ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ୱାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
କପିଳେନ୍ଦ୍ର ଦେବ (୧୪୩୫–୧୪୬୫, ଜନ୍ମ: କପିଳେନ୍ଦ୍ର ରାଉତ) ଜଣେ ଉତ୍କଳୀୟ ସମ୍ରାଟ ଥିଲେ । ତାଙ୍କ ସମୟରେ ଉତ୍କଳର ସୀମା ଉତ୍ତରରେ ଗଙ୍ଗା ନଦୀଠାରୁ ଦକ୍ଷିଣରେ କାବେରୀ ନଦୀ ପର୍ଯ୍ୟନ୍ତ ବିସ୍ତୃତ ଥିଲା ।ଯାଏଁ ଅଞ୍ଚଳ ଅଧୀକାର କରି "ଗଜପତି ଗୌଡେଶ୍ବର ନବକୋଟି କର୍ଣ୍ଣାଟ କଳବର୍ଗେଶ୍ୱର ଉପାଧୀ" ପାଇଥିଲେ । ସେ ସୂର୍ଯ୍ୟ ବଂଶର ପ୍ରତିଷ୍ଠାତା ତଥା ପ୍ରଥମ ନରପତି ଥିଲେ । "ଗୌଡ଼େଶ୍ବର"ର ଅର୍ଥ ଗୌଡ଼ ଅର୍ଥାତ୍ ବଙ୍ଗର ଅଧୀଶ୍ବର ଏବଂ "ନବକୋଟି କର୍ଣାଟ କଳବର୍ଗେଶ୍ୱର"ର ଅର୍ଥ କର୍ଣ୍ଣାଟ (ବିଜୟନଗର ସାମ୍ରାଜ୍ଯ) ଏବଂ କଳବର୍ଗ (ବାହମନୀ ସାମ୍ରାଜ୍ୟର ପୂର୍ବତନ ରାଜଧାନୀ ନାମ ଥିଲା ଗୁଲବର୍ଗା)ର ନଅକୋଟି ଅଧିବାସୀଙ୍କର ପ୍ରଭୁ । ସେ ନିଜକୁ ଜଗନ୍ନାଥଙ୍କ ପରମ ସେବକ ମଣୁଥିଲେ ଓ ଗଜପତି ଉପାଧିରେ ଭୂଷିତ କରିଥିଲେ ।
ମେଦ ବହୁଳତା ବା ଓବେସିଟି ଏକ ମେଡିକାଲ ରୋଗ ଯେଉଁଥିରେ ଅତ୍ୟଧିକ ଶରୀର ଚର୍ବି ଜମାହୋଇଯାଏ ଯାହା ସ୍ୱାସ୍ଥ୍ୟ ଉପରେ ପ୍ରତିକୁଳ ପ୍ରଭାବ ପକାଏ । ଯାହାର ବଡି ମାସ ଇଣ୍ଡେକ୍ସ (ବିଏମଆଇ) (ଲୋକର ଓଜନ ହରଣ ଲୋକର ମିଟରରେ ଉଚ୍ଚତାର ବର୍ଗ) ୩୦ରୁ ଅଧିକ ଥାଏ, ତାହାକୁ ମେଦ ବହୁଳତା କୁହାଯାଏ ଓ ୨୫ରୁ ୩୦ ଭିତରେ ଥିଲେ ଅଧିଭାର କୁହାଯାଏ । କେତେକ ପୂର୍ବ ଏସିଆ ଦେଶମାନଙ୍କରେ ଏହାଠାରୁ କମ ମୂଲ୍ୟାୟନ କରନ୍ତି । ମେଦ ବହୁଳତା ଥିଲେ ଅନେକ ରୋଗ ହେବା ସମ୍ଭାବନା ଥାଏ ଯଥା; ହୃତ୍ପିଣ୍ଡ ରୋଗ, ଡାଏବେଟିସ ୨, ଅବସ୍ଟ୍ରକ୍ଟିଭ ସ୍ଲିପ ଆପନିଆ, କେତେକ କର୍କଟ ଓ ଓଷ୍ଟିଓଆର୍ଥ୍ରାଇଟିସ ।ମେଦ ବହୁଳତାର କେତେକ ପ୍ରତିଶବ୍ଦମାନଙ୍କର ନାମ: ସ୍ଥୌଲ୍ୟତା, ମେଦୋବୃଦ୍ଧି, ସ୍ଥୁଳକାୟତ୍ତ୍ୱ, ନୁଦ୍ବୁଦ ବ୍ୟାଧି
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ରାଜେନ୍ଦ୍ର ଢୋଲକିଆ ( ୨୦ ନଭେମ୍ବର ୧୯୫୬ - ୮ ସେପ୍ଟେମ୍ବର ୨୦୨୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪, ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ତମନ୍ନା ବ୍ୟାସ (ଜନ୍ମ: ୧୪ ନଭେମ୍ବର ୧୯୯୬) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ମୁଖ୍ୟତଃ ତମନ୍ନା ନାମରେ ଓଡ଼ିଆ କଥାଚିତ୍ର ଜଗତରେ ଜଣା । ତମନ୍ନା ୨୦୧୬ ମସିହାରେ ଅଭିନେତା ପପୁ ପମ ପମଙ୍କର ବିବାଦ ଉପରେ ନିର୍ମିତ କଥାଚିତ୍ର ଭାଇନା, କ'ଣ କଲା ସେ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହି କଥାଚିତ୍ରଟିର ମୁକ୍ତିଲାଭ କରିବା ପୂର୍ବରୁ ତମନ୍ନା ପପୁ ପମ ପମଙ୍କ ସହ ତାଙ୍କର ପ୍ରଥମ ଚଳଚ୍ଚିତ୍ର ଜୋକର୍ରେ ଅଭିନୟ କରିଥିଲେ । ମାତ୍ର ଏହି କଥାଚିତ୍ରଟି ମୁକ୍ତିଲାଭ ହୋଇପାରି ନ ଥିଲା । ୨୦୧୮ ମସିହାରେ ମୁମ୍ବାଇରେ ଅନୁଷ୍ଠିତ ସେଣ୍ଟ୍ରଲ ମିସ୍ ଡିଭା ପ୍ରତିଯୋଗୀତାରେ ଲୋକମାନଙ୍କର ପସନ୍ଦରେ ଲୋକପ୍ରିୟ ମଡେଲ ପୁରସ୍କାର ପାଇଥିଲେ । ତମନ୍ନା ଓଡ଼ିଆ କଥାଚିତ୍ର ଜଗତରେ କାମ କରିବା ସହିତ ତେଲୁଗୁ କଥାଚିତ୍ର ଜଗତରେ ମଧ୍ୟ ଅଭିନୟ କରନ୍ତି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଘାସିରାମ ମାଝି (୧୭ ଜୁଲାଇ ୧୯୨୪ - ୨୩ ଅପ୍ରେଲ ୧୯୯୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସାତ ଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧, ୧୯୭୧, ୧୯୭୭, ୧୯୮୫, ୧୯୯୦ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ, ୫ମ, ୭ମ, ୯ମ, ୧୦ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ହରପ୍ପା ( Punjabi pronunciation: [ɦəɽəppaː] ; ଉର୍ଦ୍ଦୁ / Punjabi ) ପାକିସ୍ତାନର ପଞ୍ଜାବର ଏକ ପ୍ରତ୍ନତାତ୍ତ୍ୱିକ ସ୍ଥାନ, ସାହିୱାଲର ପ୍ରାୟ 24 km (15 mi) ପଶ୍ଚିମରେ ଏହି ସାଇଟ୍ ରବି ନଦୀର ପୂର୍ବ ପଥ ନିକଟରେ ଅବସ୍ଥିତ । ରବି ନଦୀ ନିକଟରେ ଅବସ୍ଥିତ ଏକ ଆଧୁନିକ ଗାଁରୁ ଏହାର ନାମକରଣ ହୋଇଛି । ରବି ନଦୀ ବର୍ତ୍ତମାନ 8 km (5.0 mi) ଉତ୍ତରରେ ଚାଲୁଛି । ହରପ୍ପାର ପ୍ରାଚୀନ ସ୍ଥାନଟି ବର୍ତ୍ତମାନର ହରପ୍ପା ଗାଁରୁ 1 km (0.62 mi)ରୁ କମ୍ ଦୂରରେ ଅବସ୍ଥିତ । ଯଦିଓ ଆଧୁନିକ ହରପ୍ପା ବ୍ରିଟିଶ ରାଜ ସମୟରୁ ଏକ ପୁରୁଣା ରେଳ ଷ୍ଟେସନ ଅଛି, ଏହା ଆଜି ୧୫,୦୦୦ ଲୋକଙ୍କ ଏକ ଛୋଟ ଛକ ସହର ଅଟେ ।
କବାଡି ଭାରତର ବିଭିନ୍ନ ଅଞ୍ଚଳରେ ଖେଳା ଯାଉଥିବା ଏକ ଲୋକପ୍ରିୟ ଖେଳ । ଏହା ସର୍ବପ୍ରଥମେ ଭାରତରୁ ଆରମ୍ଭ ହୋଇଥିବାର ନଜିର ରହିଛି । ଭାରତରେ ବିଭିନ୍ନ ପର୍ବ ପାଳନ ଅବସରରେ ତଥା ଅନ୍ୟ ସମୟରେ ଆମୋଦ ପାଇଁ ମଧ୍ୟ ଖେଳା ଯାଇଥାଏ । ଭାରତ ଛଡା ବିଭିନ୍ନ ସ୍ଥାନରେ ଏହି ଖେଳକୁ ଭିନ୍ନ ଭିନ୍ନ ଆଞ୍ଚଳିକ ନାମରେ ଲୋକମାନେ ଜାଣନ୍ତି । ବଙ୍ଗଳାଦେଶରେ ଏହି ଖେଳକୁ ହୁହୁଡୁ , ମାଳଦ୍ୱୀପରେ ଏହାକୁ ବାନାଟି , ଆନ୍ଧ୍ରପ୍ରଦେଶରେ ଏହାକୁ ଚୀଡୁଗୁଡୁ , ତାମିଲନାଡୁରେ ସାଡୁଗୁଡୁ ଆଦି ନାମରେ ଜଣାଯାଇଥାଏ । ଏହି ଖେଳଟି ବଙ୍ଗଳାଦେଶରେ ଜାତୀୟ ଖେଳ ଭାବରେ ଆଦୃତ ହୋଇଛି । ଏହାକୁ ଅଧିକ ଲୋକପ୍ରିୟ କରିବା ପାଇଁ ଏବେ ଭାରତରେ ଜାତୀୟ ସ୍ତରରେ ପ୍ରୋ କବାଡି ଲିଗ(Pro Kabaddi League) ଆୟୋଜନ କରାଯାଉଛି । ଯଦିଓ ଏହାର ନାମର ଉତ୍ପତ୍ତିକୁ ନେଇ ସେପରି କିଛି ନିର୍ଦ୍ଧିଷ୍ଟ ପ୍ରମାଣ ଆଜିଯାଏଁ ମିଳି ପାରିନାହିଁ , ତଥାପି ଉତ୍ତର ଭାରତରୁ ଏହାର ଉତ୍ପତ୍ତି ବିଷୟରେ ସୂଚନା ମିଳେ । ତାମିଲ ଶବ୍ଦ "କାଭିଡି"(ତାମିଲ ଅର୍ଥ ଅଧା ନଇଁ କରି ଖେଳିବାକୁ ବୁଝାଏ) କିମ୍ବା "କାଇ-ପିଡି"(ହାତକୁ ହାତ ଧରିକରି ଖେଳିବାକୁ ବୁଝାଏ )ରୁ "କବାଡି'" ଶବ୍ଦ ଆସିଥିବା ଅନୁମାନ କରାଯାଏ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ନୀରଜ ଚୋପ୍ରା (ଜନ୍ମ : ୨୪ ଡିସେମ୍ବର ୧୯୯୭) ଜଣେ ଭାରତୀୟ ଜାଭେଲିନ ଫିଙ୍ଗାଳୀ । ୨୦୨୧ ଅଗଷ୍ଟ ମାସ ସୁଦ୍ଧା ବିଶ୍ୱ ଆଥଲେଟିକ ଅନୁଷ୍ଠାନଦ୍ୱାରା ପ୍ରକାଶିତ ମାନ୍ୟତା ତାଲିକାରେ ତାଙ୍କର ବିଶ୍ୱ ର୍ୟାଙ୍କ ୨ଥିଲା । ସେ ଭାରତୀୟ ସ୍ଥଳସେନାରେ ଜଣେ କମିସନଡ ଅଫିସର ଭାବରେ କାର୍ଯ୍ୟରତ । ନିଜର ପ୍ରଥମ ଅଲିମ୍ପିକ ପଦାର୍ପଣରେ ସେ ୨୦୨୦ ଟୋକିଓ ଅଲିମ୍ଭିକରେ ଜାଭେଲିନ ଥ୍ରୋରେ ସ୍ୱର୍ଣ୍ଣପଦକ ହାସଲ କରିଥିଲେ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଏ ତ୍ରେତୟା ଯୁଗର ସୂର୍ଯ୍ୟବଂଶୀଯ ଅଷ୍ଟାବିଂଶ ରାଜା । ଏହାଙ୍କର ପିତା ତ୍ରିଶଙ୍କୁ ପୁତ୍ର ରୋହିତାଶ୍ୱ ଓ ରାଣୀ ଶୈବ୍ୟା ।ଏ ଅତି ଧର୍ମନିଷ୍ଠ, ଗୁଣବାନ୍ ଓ ଦାତା ଥିଲେ ଦିନେ ସ୍ୱର୍ଗରେ ବିଶ୍ୱାମିତ୍ର ବଶିଷ୍ଟଙ୍କଠାରୁ ହରିଶ୍ଚନ୍ଦ୍ରଙ୍କ ଧର୍ମନିଷ୍ଠା ଓ ଦାନତ୍ୱର ପ୍ରଶଂସା ଶୁଣି ଏହା ପରୀକ୍ଷା କରିବା ପାଇଁ ହରିଶ୍ଚନ୍ଦ୍ରଙ୍କ ନିକଟରେ ଉପସ୍ଥିତ ହେଲେ; ଏବଂ ଏହାଙ୍କୁ ରାଜ୍ୟ ସହିତ ସର୍ବସ୍ୱ ମାଗିବାରୁ ଏ ଅକୁଣ୍ଠିତ ଚିତ୍ତରେ ବିଶ୍ୱାମିତ୍ରକୁ ସମସ୍ତ ଦାନ କରି ଏକବସ୍ତ୍ର ହୋଇ ସ୍ତ୍ରୀ ଓ ପୁତ୍ର ସହିତ ରାଜ୍ୟତ୍ୟାଗ କଲେ । ତଥାପି ବିଶ୍ୱାମିତ୍ର ଏତିକିରେ ସନ୍ତୁଷ୍ଟ ନ ହୋଇ ଏହାଙ୍କଠାରୁ 'ଦାନର ଦକ୍ଷିଣା' ପାଇବା ପାଇଁ ଅଳି କଲେ । ବିଶ୍ୱାମିତ୍ରଙ୍କୁ ଦକ୍ଷିଣା ଦେବାପାଇଁ ଧନ ସଂଗ୍ରହ କରିବାର ଅନ୍ୟଉପାୟ ନଥିବାରୁ ହରିଶ୍ଚନ୍ଦ୍ର ନିଜର ସ୍ତ୍ରୀ ଶୈବ୍ୟାଙ୍କୁ ଦାସୀରୂପେ ଓ ଏକମାତ୍ର ପୁତ୍ର ରୋହିତାଶ୍ୱକୁ ଦାସରୂପେ ଜଣେ ବ୍ରାହ୍ମଣଙ୍କୁ ବିକ୍ରି କଲେ ଓ ନିଜେ ଗୋଟିଏ ଚଣ୍ଡାଳ ନିକଟରେ ଦାସତ୍ୱ ଗ୍ରହଣ କରି, ଏବଂ ଭୂତ ଦାସତ୍ୱଲବ୍ଧ ଧନ ଆଣି ବିଶ୍ୱାମିତ୍ରଙ୍କୁ ଦକ୍ଷିଣା ଦେଲେ । ଶ୍ମଶାନରେ ଶବସଂସ୍କାର କରିବାପାଇଁ ଆସିବା ବ୍ୟକ୍ତିମାନଙ୍କଠାରୁ ଶୁଳ୍କ (ଟିକସ) ଅସୁଲ କରିବାର ଭାର ଏହାଙ୍କ ଖମିଦ ଚଣ୍ଡାଳ ହରିଶ୍ଚନ୍ଦ୍ରଙ୍କଠାରେ ଅର୍ପଣ କରିଥିଲା; ତେଣୁ ଏ ଅଗତ୍ୟା ଶ୍ମଶାନରେ ରହି ସେ କାର୍ଯ୍ୟ କରୁଥାଆନ୍ତି ଏଣେ ଶୈବ୍ୟା ରୋହତାଶ୍ୱ ସହିତ ବ୍ରାହ୍ମଣ ଘରେ ଦାସୀ ବୃତ୍ତି କରି ଅତି ଦୁଃଖରେ କାଳୟାପନ କରୁଥାଆନ୍ତି, ଓ ଏହି ଅବସ୍ଥାରେ ହରିଶ୍ଚନ୍ଦ୍ରଙ୍କ ସଙ୍ଗେ ସ୍ତ୍ରୀଙ୍କର ଓ ପୁତ୍ରଙ୍କର କିଛିମାତ୍ର ସଂଶ୍ରବ ନ ଥାଏ ଏହିରୂପେ କିଛି ଦିନ ଗତ ହେବା ପରେ ରୋହିତାଶ୍ୱ ସର୍ପଦଂଶନରେ ପ୍ରାଣତ୍ୟାଗ କଲା । ଶୈବ୍ୟା ପୁତ୍ରର ଶବକୁ ସଂସ୍କାର କରିବାପାଇଁ ନିଶାରାତିରେ ଶ୍ମଶାନକୁ ନେଲେ ପ୍ରଥମେ ସ୍ୱାମୀ ଓ ସ୍ତ୍ରୀ କେହି କାହାରିକୁ ଚିହ୍ନି ପାରିଲେ ନାହିଁ ଶ୍ମଶାନରେ ଶୁଳ୍କ ଦେବାପାଇଁ ଶୈବ୍ୟାଙ୍କର ଅର୍ଥସଙ୍ଗତି ନ ଥିଲା ତଥାପି ଚଣ୍ଡାଳର ନିର୍ଦ୍ଧାରିତ ଶୁଳ୍କ ଦେବାପାଇଁ ହରିଶ୍ଚନ୍ଦ୍ର ଶୈବ୍ୟାଙ୍କୁ ଜିଗର କରିବାରୁ ଶୈବ୍ୟା ଶୋକାଭିଭୁତା ହୋଇ ନିଜର ପୂର୍ବ ବୃତ୍ତାନ୍ତ ବର୍ଣ୍ଣନା କରି ରୋଦନ କଲେ; ହରିଶ୍ଚନ୍ଦ୍ର ଶୈବ୍ୟାଙ୍କୁ ଓ ଶୈବ୍ୟା ହରିଶ୍ଚନ୍ଦ୍ରଙ୍କୁ ଚିହ୍ନିଲେ ଏକମାତ୍ର ପୁତ୍ର ମୃତ ହେବାରୁ ମାତାପିତା ଦୁହେଁ ମଧ୍ୟ ପୁତ୍ରର ଶବ ସଙ୍ଗେ ଚିତାଗ୍ନିରେ ଝାସ ଦେଇ ଇହଲୋକର ପାପତାପ ଦୁଃଖଶୋକରୁ ମୃକ୍ତ ହେବା ପାଇଁ ଚିତାଗ୍ନି ଜଳାଇଲେ । ଏହି ଅବସ୍ଥାରେ ଏହାଙ୍କର ଧର୍ମନିଷ୍ଠତାରେ ପ୍ରୀତ ହୋଇ ବିଶ୍ୱାମିତ୍ର ସେହି ଶ୍ମଶାନରେ ଉପସ୍ଥିତ ହେଲେ ଓ ବର ଦାନପୂର୍ବକ ରୋହିତାଶ୍ୱକୁ ଜୀଆଇଁ ଦେଲେ ଓ ହରିଶ୍ଚନ୍ଦ୍ରଙ୍କୁ ରାଜ୍ୟ ଫେରାଇ ଦେଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।