ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଭାରତର ସ୍ୱାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଶାର ଅନୁସୂଚିତ ଜନଜାତି ତାଲିକା
ଅନୁସୂଚିତ ଜନଜାତି ନିର୍ଦ୍ଦିଷ୍ଟ ଜନଜାତି ଯେଉଁମାନେ ସେ ସ୍ଥାନର ମୂଳ ଅଧିବାସୀ, ଯେଉଁଥି ପାଇଁ ସେମାନେ ଆଦିବାସୀ ଭାବରେ ମଧ୍ୟ ପରିଚିତ । ଭାରତରେ, ଭାରତୀୟ ଗଣତନ୍ତ୍ରର ସମ୍ବିଧାନଦ୍ୱାରା ସ୍ୱୀକୃତିପ୍ରାପ୍ତ ଅନୁସୂଚିତ ଜନଜାତି ମଧ୍ୟରୁ ୬୨ ପ୍ରକାର ଅନୁସୂଚିତ ଜନଜାତି ଓଡ଼ିଶାରେ ବସବାସ କରନ୍ତି । ଏହି ୬୨ଟି ଜନଜାତି ମଧ୍ୟରୁ ୧୩ଟି ଜନଜାତି "ବିଶେଷ ଭାବରେ ଦୁର୍ବଳ ଆଦିବାସୀ ଗୋଷ୍ଠୀ" ଶ୍ରେଣୀରେ ଅନ୍ତର୍ଭୁକ୍ତ । ଆଦିବାସୀମାନେ ଓଡ଼ିଶାର ମୋଟ ଜନସଂଖ୍ୟାର ୨୨.୫%ରୁ ଅଧିକ (ସମୁଦାୟ ୮,୧୪୫,୦୮୧) ଏବଂ ଭାରତର ମୋଟ ଆଦିବାସୀ ଜନସଂଖ୍ୟାର ୯.୭% ଅଟନ୍ତି ।
ଅଭିଜିତ ମଜୁମଦାର (ଜନ୍ମ : ୧୧ ସେପ୍ଟେମ୍ବର ୧୯୭୧) ଜଣେ ଓଡ଼ିଆ କଥାଚିତ୍ର ସଙ୍ଗୀତ ନିର୍ଦ୍ଦେଶକ ଓ ଗାୟକ । ୨୦୦୦ ମସିହାରେ ସେ ଓଡ଼ିଆ କଥାଚିତ୍ର ଜଗତରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ଆରମ୍ଭ କରିଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଆଧୁନିକ ଆଲବମ୍, ଭଜନ, ସମ୍ବଲପୁରୀ ଆଲବମ୍, ଓଡ଼ିଆ ଧାରାବାହିକ ଆଦିର ଗୀତ ନିର୍ମାଣ କରନ୍ତି । ୧୯୯୧ ମସିହାରେ ଅଭିଜିତ ପ୍ରଥମ କରି ସଙ୍ଗୀତ ଜଗତରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ତାଙ୍କ ନିର୍ଦ୍ଦେଶିତ ପ୍ରଥମ ସମ୍ବଲପୁରୀ ଆଲବମ୍ ଥିଲା ଦକ୍ସି ଗଲା ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ମେଦ ବହୁଳତା ବା ଓବେସିଟି ଏକ ମେଡିକାଲ ରୋଗ ଯେଉଁଥିରେ ଅତ୍ୟଧିକ ଶରୀର ଚର୍ବି ଜମାହୋଇଯାଏ ଯାହା ସ୍ୱାସ୍ଥ୍ୟ ଉପରେ ପ୍ରତିକୁଳ ପ୍ରଭାବ ପକାଏ । ଯାହାର ବଡି ମାସ ଇଣ୍ଡେକ୍ସ (ବିଏମଆଇ) (ଲୋକର ଓଜନ ହରଣ ଲୋକର ମିଟରରେ ଉଚ୍ଚତାର ବର୍ଗ) ୩୦ରୁ ଅଧିକ ଥାଏ, ତାହାକୁ ମେଦ ବହୁଳତା କୁହାଯାଏ ଓ ୨୫ରୁ ୩୦ ଭିତରେ ଥିଲେ ଅଧିଭାର କୁହାଯାଏ । କେତେକ ପୂର୍ବ ଏସିଆ ଦେଶମାନଙ୍କରେ ଏହାଠାରୁ କମ ମୂଲ୍ୟାୟନ କରନ୍ତି । ମେଦ ବହୁଳତା ଥିଲେ ଅନେକ ରୋଗ ହେବା ସମ୍ଭାବନା ଥାଏ ଯଥା; ହୃତ୍ପିଣ୍ଡ ରୋଗ, ଡାଏବେଟିସ ୨, ଅବସ୍ଟ୍ରକ୍ଟିଭ ସ୍ଲିପ ଆପନିଆ, କେତେକ କର୍କଟ ଓ ଓଷ୍ଟିଓଆର୍ଥ୍ରାଇଟିସ ।ମେଦ ବହୁଳତାର କେତେକ ପ୍ରତିଶବ୍ଦମାନଙ୍କର ନାମ: ସ୍ଥୌଲ୍ୟତା, ମେଦୋବୃଦ୍ଧି, ସ୍ଥୁଳକାୟତ୍ତ୍ୱ, ନୁଦ୍ବୁଦ ବ୍ୟାଧି
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଘାସିରାମ ମାଝି (୧୭ ଜୁଲାଇ ୧୯୨୪ - ୨୩ ଅପ୍ରେଲ ୧୯୯୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସାତ ଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧, ୧୯୭୧, ୧୯୭୭, ୧୯୮୫, ୧୯୯୦ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ, ୫ମ, ୭ମ, ୯ମ, ୧୦ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶାରେ ଘରର ପୂର୍ବଜମାନଙ୍କୁ ବଡ଼ବଡ଼ିଆ ବା ବଡ଼ବଡ଼ୁଆ ବୋଲି କୁହାଯାଇଥାଏ । ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ଆପଣାର ମୃତ ପୂର୍ବପୁରୁଷଗଣଙ୍କୁ ବଡ଼ବଡ଼ିଆ କୁହାଯାଏ । ଏହି ଗ୍ରନ୍ଥ ଅନୁସାରେ ବଡ଼ବଡ଼ିଆ ଶବ୍ଦର ଅନ୍ୟ ଏକ ଅର୍ଥ ହେଲା ହାଣ୍ଡିଶାଳରେ ରଚିତ ପୂର୍ବପୁରୁଷମାନଙ୍କର କଳ୍ପିତ ପ୍ରତିମା । ଦୀପାବଳୀ ବା କାର୍ତ୍ତିକ ମାସର ଅମାବାସ୍ୟା ଦିନ ଲୋକେ କାଉଁରିଆ କାଠି ଜାଳି ତାହାର ଆଲୋକକୁ ଆକାଶକୁ ଦେଖାନ୍ତି ଯାହାଦ୍ୱାରା ପିତୃପୁରୁଷଙ୍କ ପଥ ଆଲୋକିତ ହୁଏ ବୋଲି ବିଶ୍ୱାସ ରହିଛି ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଲୋକରତ୍ନ କୁଞ୍ଜବିହାରୀ ଦାଶ, (୭ ମାର୍ଚ୍ଚ ୧୯୧୪ - ୧୪ ମାର୍ଚ୍ଚ ୧୯୯୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଅଧ୍ୟାପକ, ଲେଖକ ଓ ଗବେଷକ ଥିଲେ । ତାଙ୍କର ଆମେରିକାରୁ ୟୁରୋପ୍ ଆଫ୍ରିକା ପୁସ୍ତକ ପାଇଁ ସେ ୧୯୬୫-୬୭ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ମୋ କାହାଣୀ ପାଇଁ ୧୯୭୯ କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର ପାଇଥିଲେ । କଲିକତା ଏକାଡେମୀ ଅଫ୍ ଫୋକଲୋର ତାଙ୍କୁ ୧୯୭୮ ମସିହାରେ "ଲୋକରତ୍ନ" ଉପାଧି ପ୍ରଦାନ କରିଥିଲା । ଜଣେ ସାରସ୍ୱତ ସଂଗଠକ ଭାବରେ ସେ ବହୁ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ସମ୍ବିଧାନ ଅନୁସାରେ ଲୋକ ସଭା, ଭାରତର ଦ୍ୱିଗୃହ ଭାରତୀୟ ସଂସଦର ନିମ୍ନ ସଦନ । ଲୋକ ସଭାର ସଦସ୍ୟମାନେ ନିଜ ନିଜ ନିର୍ବାଚନ ମଣ୍ଡଳୀକୁ ପ୍ରତିନିଧିତ୍ୱ କରିବା ପାଇଁ ଏକ ସାର୍ବଭୌମିକ ବୟସ୍କ ମତାଧିକାର ଏବଂ ସିଧାସଳଖ ମତଦାନ ବ୍ୟବସ୍ଥାଦ୍ୱାରା ନିର୍ବାଚିତ ହୁଅନ୍ତି ଏବଂ ସେମାନେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ କିମ୍ବା ମନ୍ତ୍ରୀ ପରିଷଦର ପରାମର୍ଶ କ୍ରମେ ରାଷ୍ଟ୍ରପତିଙ୍କଦ୍ୱାରା ଲୋକ ସଭା ଭଙ୍ଗ ନହେବା ପର୍ଯ୍ୟନ୍ତ ସେମାନଙ୍କ ପଦବୀରେ ରହିଥାନ୍ତି । ନୂଆଦିଲ୍ଲୀସ୍ଥିତ ସଂସଦ ଭବନର ଲୋକ ସଭା କକ୍ଷରେ ଏହାର ଅଧିବେଶନ ଅନୁଷ୍ଠିତ ହୋଇଥାଏ। ଏଠାରେ ଭାରତର ୨୮ଟି ରାଜ୍ୟ ଓ ୮ଟି କେନ୍ଦ୍ର ଶାସିତ ଅଞ୍ଚଳରୁ ୫୪୩ ଜଣ ସାଂସଦ ପ୍ରତିନିଧିତ୍ୱ କରନ୍ତି।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମାନସିକ କଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ସରଳା ଦେବୀ (୧୯ ଅଗଷ୍ଟ ୧୯୦୪ - ୪ ଅକ୍ଟୋବର ୧୯୮୬ ) ଜଣେ ଭାରତୀୟ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଓ ଲେଖିକା ଥିଲେ । ବିଂଶ ଶତାବ୍ଦୀର ପ୍ରଥମ ଭାଗରେ ବ୍ରିଟିଶ ସରକାର ଅଧୀନରେ ଥିବା ବେଳେ ଭାରତରେ ନାରୀମାନଙ୍କର ସାମାଜିକ ଓ ରାଜନୈତିକ ଅଧିକାର ପାଇଁ ଆନ୍ଦୋଳନ ଆରମ୍ଭ ହେବା ସହ ନାରୀ ଶିକ୍ଷାର ପ୍ରଚାର ପ୍ରସାର ହୋଇଥିଲା । ସେହି ସମୟରେ ଏହାର ପ୍ରଭାବରେ ଓଡ଼ିଶାର ନାରୀନେତ୍ରୀ ରମାଦେବୀ, ମାଳତୀ ଚୌଧୁରୀ, ଗୋଦାବରୀ ଦେବୀ ପ୍ରମୁଖଙ୍କ ସହ ସେ ଭାରତର ସ୍ୱାଧୀନତା ଓ ନାରୀ ସ୍ୱାଧୀନତା ପାଇଁ ଲଢ଼ିଥିଲେ । ସେ ସତ୍ୟାଗ୍ରହରେ ଭାଗନେଇଥିବା ପ୍ରଥମ ଓଡ଼ିଆ ମହିଳା । ଇଞ୍ଚୁଡ଼ିଠାରେସେ ଲବଣ ସତ୍ୟାଗ୍ରହରେ ଭାଗନେଇଥିଲେ । ସ୍ୱାଧୀନତା ଆନ୍ଦୋଳନର ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସେ ଜେଲଦଣ୍ଡ ଭୋଗ କରିଥିଲେ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
କୋୟା, ଏକ ପ୍ରଜାତିର ଆଦିମ ଅଧିବାସୀ ଯେଉଁମାନେ ଓଡ଼ିଶାର ମାଲକାନଗିରି ସହ ଆନ୍ଧ୍ରପ୍ରଦେଶ ଓ ମଧ୍ୟପ୍ରଦେଶରେ ବସବାସ କରନ୍ତି । କୋୟାମାନେ ଗଣ୍ଡ ସମ୍ପ୍ରଦାୟ ଅନ୍ତର୍ଭୁକ୍ତ, ଯେଉଁମାନେ ଗଣ୍ଡ ସମାଜରୁ ବାସନ୍ଦ ହୁଅନ୍ତି, ସେମାନେ ନିଜକୁ କୋୟା ଭାବେ ପରିଚିତ କରାଇଥାନ୍ତି । କୋୟାମାନଙ୍କ ଭିତରେ ଗଣ୍ଡିଆ ଜାତିର ଲୋକେ ଥିବା ଜଣାଯାଏ । କୋୟା ଓ ଗଣ୍ଡିଆମାନଙ୍କ ନଧ୍ୟରେ ବିବାହ ସମ୍ପର୍କ ଥିଲେ ମଧ୍ୟ ଗଣ୍ଡିଆମାନେ ନିଜକୁ କୋୟାମାନଙ୍କଠାରୁ ଶ୍ରେଷ୍ଠ ବୋଲି କହନ୍ତି । କୋୟାମାନେ ତିନି ଗୋଷ୍ଠୀରେ ବିଭକ୍ତ ଯଥା: କୋୟା, କମାରି/ କମାର ଓ ମୁଷରୀ । ଏହି ତିନିଗୋଷ୍ଠି ମଧ୍ୟରେ କୋୟା ଶ୍ରେଷ୍ଠ । କମାର ଗୋଷ୍ଠିର ଲୋକେ ଲୁହାରେ ବିଭିନ୍ନ ପ୍ରକାର ହତିଆର ଓ ସାଜ ସରଞ୍ଜାମ ପ୍ରସ୍ତୁତ କରିଥାନ୍ତି । ମୁଷରୀ ଗୋଷ୍ଠିର ଲୋକମାନେ ଲୁହା କାମ କରନ୍ତି । ମୁଷରୀ ଗୋଷ୍ଠିର ଲୋକମାନେ ତମ୍ବା, ପିତ୍ତଳ ଓ ରସ (ଆଲୁମିନିଅମ)ରେ ନାନା ପ୍ରକାର ଅଳଙ୍କାର ତିଆରି କରନ୍ତି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଶିବପୁତ୍ର କାର୍ତ୍ତିକେୟଙ୍କ ଗୁଣ କୀର୍ତ୍ତି ସମ୍ପୂର୍ଣ୍ଣ ଅଲଗା ବୋଲି ତାଙ୍କ ନାମ ଅନୁସାରେ କାର୍ତ୍ତିକ ମାସର ପ୍ରଚଳନ ଅଛି। କାରଣ ଶିବ ପାର୍ବତୀଙ୍କ ଔରସରୁ ଜାତ ପୁତ୍ର ହିଁ ତାରକାସୁରକୁ ନିଧନ କରିବ ଶିବ ପାର୍ବତୀଙ୍କ ବିବାହ ପରେ ଶୃଙ୍ଗାର ସମୟରେ ସେଠାରେ ବିଷ୍ଣୁ ପହଞ୍ଚିବା କ୍ଷଣି ମା’ ପାର୍ବତୀ ଅତ୍ୟନ୍ତ ଲଜ୍ଜିତ ହୋଇ ବିଷ୍ଣୁଙ୍କୁ ଅଶ୍ୱତ୍ଥ ବୃକ୍ଷ ଓ ଶିବଙ୍କୁ ବଟବୃକ୍ଷ ହୁଅ ବୋଲି ଅଭିଶାପ ଦେଲେ। ଏଣେ ଶିବଙ୍କର ରେତ ସ୍ଖଳନ ହେବା କ୍ଷଣି ଗଙ୍ଗାନଦୀ ତାକୁ ବହନ କରିନେବା ସମୟରେ କୃତ୍ତିକାଦି ଷଢ଼ ଦେବକନ୍ୟା ଗଙ୍ଗାରେ ସ୍ନାନ ସମୟରେ ସେମାନଙ୍କ ମୁଖରେ ରେତ ସ୍ଥାପନ ହେବାରୁ ସେମାନେ ଅନ୍ତସତ୍ତ୍ୱା ହେଲେ ଏବଂ ସେମାନଙ୍କଠାରୁ ଷଡ ମୁଖଧାରୀ କାର୍ତ୍ତିକେୟଙ୍କର ଜନ୍ମ ଶିବପାର୍ବତୀଙ୍କ ଅଗୋଚରରେ ସ୍ୱର୍ଗରେ ହେଲା। ସେ ବଡ଼ ହୋଇ ସ୍ୱର୍ଗରେ ଦେବତାଙ୍କ ସେନାପତି ହୋଇ ବ୍ରହ୍ମଚାରୀ ଜୀବନ କଟାଇଥିଲେ ଓ ମୟୁର ଯିଏକି ଆଜନ୍ମ ବ୍ରହ୍ମଚାରୀ ତାଙ୍କର ବାହାନ ହୋଇ ତାରକାସୁରକୁ ହତ୍ୟା କରିଥିଲେ।
ପଣ୍ଡିତ ବାଇକୋଳି ମହାପାତ୍ର (୧୬ ଡିସେମ୍ବର ୧୯୦୮ - ୨୦ ଡିସେମ୍ବର ୧୯୭୭) ଏକାଧାରରେ ଜଣେ ସାହିତ୍ୟିକ, ଐତିହାସିକ, ଶିକ୍ଷାବିତ୍ ଓ ସଂଗଠକ ଥିଲେ । ସେ ଗଞ୍ଜାମ ଜିଲ୍ଲାର ଖଲିକୋଟ ଅନ୍ତର୍ଗତ ବାଲୁଙ୍କେଶ୍ୱର ଶାସନରେ ୧୯୦୮ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଅଗ୍ରଜମାନେ ଅକାଳରେ ମରି ଯାଉଥିବାରୁ ତାଙ୍କ ପିତାମାତା ଅପମୃତ୍ୟୁ ଟଳାଇବା ଉଦ୍ଦେଶ୍ୟରେ ତାଙ୍କର ନାମ ବାଇକୋଳି (ବିଷାକ୍ତ କୋଳି) ରଖିଥିଲେ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ହରପ୍ପା ( Punjabi pronunciation: [ɦəɽəppaː] ; ଉର୍ଦ୍ଦୁ / Punjabi ) ପାକିସ୍ତାନର ପଞ୍ଜାବର ଏକ ପ୍ରତ୍ନତାତ୍ତ୍ୱିକ ସ୍ଥାନ, ସାହିୱାଲର ପ୍ରାୟ 24 km (15 mi) ପଶ୍ଚିମରେ ଏହି ସାଇଟ୍ ରବି ନଦୀର ପୂର୍ବ ପଥ ନିକଟରେ ଅବସ୍ଥିତ । ରବି ନଦୀ ନିକଟରେ ଅବସ୍ଥିତ ଏକ ଆଧୁନିକ ଗାଁରୁ ଏହାର ନାମକରଣ ହୋଇଛି । ରବି ନଦୀ ବର୍ତ୍ତମାନ 8 km (5.0 mi) ଉତ୍ତରରେ ଚାଲୁଛି । ହରପ୍ପାର ପ୍ରାଚୀନ ସ୍ଥାନଟି ବର୍ତ୍ତମାନର ହରପ୍ପା ଗାଁରୁ 1 km (0.62 mi)ରୁ କମ୍ ଦୂରରେ ଅବସ୍ଥିତ । ଯଦିଓ ଆଧୁନିକ ହରପ୍ପା ବ୍ରିଟିଶ ରାଜ ସମୟରୁ ଏକ ପୁରୁଣା ରେଳ ଷ୍ଟେସନ ଅଛି, ଏହା ଆଜି ୧୫,୦୦୦ ଲୋକଙ୍କ ଏକ ଛୋଟ ଛକ ସହର ଅଟେ ।
ଅର୍ଥଶାସ୍ତ୍ର ପ୍ରାଚୀନ ଭାରତର ଏକ ରଚନା । ଏହା ସଂସ୍କୃତ ଭାଷାରେ ଲିଖିତ ଏବଂ ଏଥିରେ ରାଜ୍ୟ ପରିଚାଳନା, ରାଜନୀତି, ସମରନୀତି ପରି ଅନେକ ଗୁରୁତ୍ତ୍ୱପୂର୍ଣ୍ଣ ବିଷୟ ବର୍ଣ୍ଣିତ ହୋଇଛି । କୌଟିଲ୍ୟ ଏହି ଶାସ୍ତ୍ରର ରଚୟିତା । କୌଟିଲ୍ୟ ବିଷ୍ଣୁଗୁପ୍ତ ଓ ଚାଣକ୍ୟ ନାମରେ ମଧ୍ୟ ପ୍ରସିଦ୍ଧ । କେତେକ ମତାନୁସାରେ ଅନେକ ଶତାବ୍ଦୀ ଧରି ବିଭିନ୍ନ ଶ୍ଳୋକର ସମାହାରରେ ଏହି ଶାସ୍ତ୍ରର ରଚନା ହୋଇଛି ଏବଂ ଏହାର ମୁଖ୍ୟ ଶ୍ରେୟ ଚାଣକ୍ୟଙ୍କୁ ଦିଆଯାଇଛି । ତକ୍ଷଶିଳାର ମହାଜ୍ଞାନୀ ଚାଣକ୍ୟ ସମ୍ରାଟ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କ ଗୁରୁ ଓ ଉପଦେଷ୍ଟା ଥିଲେ । କିନ୍ତୁ କେତେକ ଐତିହାସିକ ଏହି ତଥ୍ୟକୁ ଗ୍ରହଣ କରି ନାହାନ୍ତି।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।