ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ସ୍ନେହାଙ୍ଗିନୀ ଛୁରିଆ (ଜନ୍ମ: ୯ ଡିସେମ୍ବର ୧୯୬୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ୨୦୧୪ ଓଡ଼ିଶା ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଅତାବିରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓଡ଼ିଶା ବିଧାନ ସଭାର ୧୫ଶ ସଭାକୁ ନିର୍ବାଚିତ ହୋଇଥିଲେ । ସ୍ନେହାଙ୍ଗିନୀ ଓଡ଼ିଶା ବିଧାନ ସଭାର ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୪ରୁ ୨୦୧୭ ଯାଏଁ ସେ ରାଜ୍ୟ ଆଦିବାସୀ କଲ୍ୟାଣ ବିଭାଗର ମନ୍ତ୍ରୀ ଥିଲେ ଏବଂ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଭାବରେ ସେ ୨୦୧୪ରୁ ଏବେଯାଏଁ କାର୍ଯ୍ୟ କରି ଆସୁଛନ୍ତି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଘାସିରାମ ମାଝି (୧୭ ଜୁଲାଇ ୧୯୨୪ - ୨୩ ଅପ୍ରେଲ ୧୯୯୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସାତ ଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧, ୧୯୭୧, ୧୯୭୭, ୧୯୮୫, ୧୯୯୦ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ, ୫ମ, ୭ମ, ୯ମ, ୧୦ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷାର ସାମୁହିକ ବ୍ୟବହାର ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ଓଡ଼ିଆ ଭାଷା ଆନ୍ଦୋଳନ ନାମରେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲାହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମେଦ ବହୁଳତା ବା ଓବେସିଟି ଏକ ମେଡିକାଲ ରୋଗ ଯେଉଁଥିରେ ଅତ୍ୟଧିକ ଶରୀର ଚର୍ବି ଜମାହୋଇଯାଏ ଯାହା ସ୍ୱାସ୍ଥ୍ୟ ଉପରେ ପ୍ରତିକୁଳ ପ୍ରଭାବ ପକାଏ । ଯାହାର ବଡି ମାସ ଇଣ୍ଡେକ୍ସ (ବିଏମଆଇ) (ଲୋକର ଓଜନ ହରଣ ଲୋକର ମିଟରରେ ଉଚ୍ଚତାର ବର୍ଗ) ୩୦ରୁ ଅଧିକ ଥାଏ, ତାହାକୁ ମେଦ ବହୁଳତା କୁହାଯାଏ ଓ ୨୫ରୁ ୩୦ ଭିତରେ ଥିଲେ ଅଧିଭାର କୁହାଯାଏ । କେତେକ ପୂର୍ବ ଏସିଆ ଦେଶମାନଙ୍କରେ ଏହାଠାରୁ କମ ମୂଲ୍ୟାୟନ କରନ୍ତି । ମେଦ ବହୁଳତା ଥିଲେ ଅନେକ ରୋଗ ହେବା ସମ୍ଭାବନା ଥାଏ ଯଥା; ହୃତ୍ପିଣ୍ଡ ରୋଗ, ଡାଏବେଟିସ ୨, ଅବସ୍ଟ୍ରକ୍ଟିଭ ସ୍ଲିପ ଆପନିଆ, କେତେକ କର୍କଟ ଓ ଓଷ୍ଟିଓଆର୍ଥ୍ରାଇଟିସ ।ମେଦ ବହୁଳତାର କେତେକ ପ୍ରତିଶବ୍ଦମାନଙ୍କର ନାମ: ସ୍ଥୌଲ୍ୟତା, ମେଦୋବୃଦ୍ଧି, ସ୍ଥୁଳକାୟତ୍ତ୍ୱ, ନୁଦ୍ବୁଦ ବ୍ୟାଧି
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଓଡ଼ିଶାର ପର୍ବପର୍ବାଣି ଗୁଡ଼ିକ ଋତୁ, ଧର୍ମ ଓ ସାମାଜିକ ଭିତ୍ତିରେ ପାଳନ କରାଯାଏ । ତନ୍ମଧ୍ୟରୁ ଅନେକ ପର୍ବ କୃଷି ସମ୍ବନ୍ଧୀୟ । ତୁଳା ମାସର ସଂକ୍ରାନ୍ତି ଗର୍ଭଣା ସଂକ୍ରାନ୍ତି ନାମରେ ଜଣାଯାଏ । ଇଂରାଜୀ ମାସ ଅକ୍ଟୋବରରେ ପଡ଼େ ଏହି ସଂକ୍ରାନ୍ତି । ଗର୍ଭ କହିଲେ ଭୃଣକୁ ବୁଝାଯାଏ । ଏହି ସଂକ୍ରାନ୍ତି ବେଳକୁ ଧାନ ଗଛର ଗର୍ଭରେ ଧାନ କେଣ୍ଡା ବାହାରେ । ଏହି ସମୟରେ ଗର୍ଭଣା ଗଛର ଡାଳକୁ ପୂଜା କରି କ୍ଷେତରେ ପୋତିଲେ ଭଲ ଫସଲ ହୁଏ ବୋଲି ପ୍ରବାଦ ରହିଛି । ଗର୍ଭଣା ଗଛକୁ କେତେକ ସ୍ଥାନରେ ଅଙ୍କରାନ୍ତି ଗଛ ମଧ୍ୟ କହନ୍ତି । ଏହାର ଅନେକ ଔଷଧୀୟ ଗୁଣ ରହିଛି । ଚାଷୀମାନେ ଏହିଦିନ ନିଷ୍ଠାର ସହିତ ପାଳନ କରନ୍ତି । ଗୃହ ମାଲିକ ତଥା କୃଷକ ସ୍ନାନାଦି କର୍ମ ସାରି ଗର୍ଭଣା ଗଛର ଡାଳ ଆଣି ବିଧିପୂର୍ବକ ପୂଜା କଲା ପରେ ଧାନ କ୍ଷେତରେ ପୋତି ଦିଅନ୍ତି ଏବଂ ଭଲ ଫସଲ ପାଇଁ ପ୍ରାର୍ଥନା କରନ୍ତି । ଗର୍ଭଣା ସଂକ୍ରାନ୍ତି ଉପରେ ଏକ କୃଷି ବଚନ ଅଛି- ଆଗେ ବୁଣୁ ପଛେ ବୁଣୁ, ଗର୍ଭଣାକୁ ଟୁଣୁଟୁଣୁ । ଅର୍ଥାତ ଏହି ସମୟକୁ ଧାନଗଛ ଗର୍ଭଧାରଣ କରିସାରିଥାଏ ।
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ପ୍ରଦୂଷଣ ହେଉଛି ପ୍ରାକୃତିକ ପରିବେଶରେ ପ୍ରଦୂଷକ ପଦାର୍ଥର ପରିଚୟ, ଯାହା ସ୍ୱାଭାବିକ ପ୍ରକୃତିରେ ପ୍ରତିକୂଳ ପରିବର୍ତ୍ତନ ଆଣିଥାଏ । ପ୍ରଦୂଷଣ ରାସାୟନିକ ପଦାର୍ଥ ବା ଶକ୍ତିର ରୂପ ନେଇପାରେ, ଯେପରିକି ଶବ୍ଦ, ଉତ୍ତାପ କିମ୍ବା ଆଲୋକ । ପ୍ରଦୂଷଣ, ପ୍ରଦୂଷଣର ଉପାଦାନ, ବିଦେଶୀ ପଦାର୍ଥ/ଶକ୍ତି କିମ୍ବା ପ୍ରାକୃତିକ ଭାବରେ ଘଟୁଥିବା ପ୍ରଦୂଷକ ହୋଇପାରେ । ପ୍ରଦୂଷଣ ପ୍ରାୟତଃ ଏକ ନିର୍ଦ୍ଧିଷ୍ଟ ଉତ୍ସ କିମ୍ବା ବହୁ ଉତ୍ସଜନିତ ପ୍ରଦୂଷଣ ଭାବରେ ଶ୍ରେଣୀଭୁକ୍ତ ହୋଇଥାଏ । ୨୦୧୫ରେ, ପ୍ରଦୂଷଣରେ ବିଶ୍ୱରେ ୯ ନିୟୁତ ଲୋକ ପ୍ରାଣ ହରାଇଥିଲେ।
ବିଶ୍ୱ ସଂସ୍କୃତ ଦିବସ, ବା ବିଶ୍ୱ ସଂସ୍କୃତ ଦିନମ (ସଂସ୍କୃତ: विश्वसंस्कृतदिनम्), ପ୍ରତିବର୍ଷ ଶ୍ରାବଣ ପୂର୍ଣ୍ଣିମା ଦିନ ପାଳନ କରାଯାଏ । ଏହା ପ୍ରାୟତଃ ଇଂରାଜୀ କ୍ୟାଲେଣ୍ଡରର ଅଗଷ୍ଟ ମାସରେ ପଡ଼ିଥାଏ । ସଂସ୍କୃତ ଭାଷାର ସାଂସ୍କୃତିକ ବିଶେଷତ୍ୱ ତଥା ଏହାର ଗୁରୁତ୍ୱ ସମ୍ବନ୍ଧରେ ସଚେତନତା ସୃଷ୍ଟି କରିବା ଏହି ଦିବସ ପାଳନ କରାଯାଏ । ୧୯୬୯ ମସିହାରେ ଭାରତ ସରକାର ଏହି ଦିବସ ପାଳନ କରିବା ନିମନ୍ତେ ନିଷ୍ପତି ନେଇଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।