ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲାହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ଓଡ଼ିଶାର ପୁରାଣ ବର୍ଣ୍ଣିତ ପ୍ରମୁଖ ସ୍ଥାନ ଓ ମନ୍ଦିର ମଧ୍ୟରେ ନିଆଳି ବ୍ଳକର ମାଧବାନନ୍ଦ ଜୀଉଙ୍କ ମନ୍ଦିର ଅନ୍ୟତମ । ଖ୍ରୀଷ୍ଟୀୟ ୧୩ଶ ଶତାବ୍ଦୀରେ ଏହି ମନ୍ଦିର ନିର୍ମାଣ ହୋଇଥିବାର ସୂଚନା ମିଳେ । ମାଧବାନନ୍ଦଜିଉଙ୍କ ନାମାନୁସାରେ ଏହି ସ୍ଥାନର ନାମ ମାଧବ ରଖାଯାଇଛି । ଏହିମନ୍ଦିରର ସବୁଠାରୁ ଉଲ୍ଲେଖନୀୟ କଥା ହେଲା ଦୁର୍ଗା ଓ ମାଧବ ଏଠାରେ ଯୁଗଳ ଅଙ୍ଗରେ ବିରାଜମାନ । ଏହାକୁ ମଧ୍ୟ ବିଶ୍ୱପ୍ରସିଦ୍ଧ ଜଗତର ନାଥ ଜଗନ୍ନାଥଙ୍କ ମାମୁଁଘର ବୋଲି କୁହାଯାଏ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଈଶା ଦେଓଲ (ଇଂରାଜୀ ଭାଷାରେ Esha Deol- ଜନ୍ମ ୨ ନଭେମ୍ବର ୧୯୮୧) ଜଣେ ଭାରତୀୟ ଅଭିନେତ୍ରୀ ଓ ମଡେଲ ଯିଏ ମୁଖ୍ୟତଃ ହିନ୍ଦୀ ଚଳଚ୍ଚିତ୍ରରେ ଦେଖାଯାଆନ୍ତି । ଅଭିନେତା-ରାଜନୀତିଜ୍ଞ ଧର୍ମେନ୍ଦ୍ର ଓ ହେମା ମାଳିନୀଙ୍କର କନ୍ୟା ଈଶା ପ୍ରଥମ ଥର ନିମନ୍ତେ ସନ ୨୦୦୨ରେ 'କୋଇ ମେରେ ଦିଲ ସେ ପୁଛେ' (Koi Mere Dil Se Poochhe) ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ଓ ସେଥି ନିମନ୍ତେ ପ୍ରଥମ ପ୍ରବେଶରେ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ଫିଲିମଫେୟାର ପୁରସ୍କାର (Filmfare Award for Best Female Debut) ପାଇଥିଲେ ।
ନୂଆପଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ନୂଆପଡ଼ା (କ୍ରମିକ ସଂଖ୍ୟା: ୭୧) ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ଓକିଲ, ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ଭାରତର ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବାରେ ତାଙ୍କର ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ" ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ପରଜା ଗୋପୀନାଥ ମହାନ୍ତିଙ୍କ ରଚିତ ଏକ ଭାରତୀୟ ଓଡ଼ିଆ ଉପନ୍ୟାସ । ଏହାର ମୁଖ୍ୟ ବିଭାବ ହେଲା ବାସ୍ତବବାଦୀ ଉପନ୍ୟାସ । ବିଂଶ ଶତାବ୍ଦୀର ମଧ୍ୟଭାଗରେ ଏହିପରି ଉପନ୍ୟାସର ଚାହିଦା ଫ୍ରାନସ ତଥା ୟୁରୋପର ଅନ୍ୟାନ୍ୟ ପ୍ରାନ୍ତରେ ବହୁତ ପରିଲକ୍ଷିତ ହେଉଥିଲା । ଏହା ବିଭିନ୍ନ ଭାରତୀୟ ଭାଷାରେ ତଥା ଇଂରାଜୀରେ ମଧ୍ୟ ଅନୁବାଦିତ ହୋଇସରିଛି । ଇଂରାଜୀରେ ଏହାର ଅନୁବାଦ କରିଥିଲେ ପ୍ରଫେସର ବିକ୍ରମ ଦାସ ।
ଅଭିନେତ୍ରୀ (୧୯୬୫ର ଓଡ଼ିଆ କଥାଚିତ୍ର)
ଅମର ଗାଙ୍ଗୁଲିଙ୍କ ନିର୍ଦ୍ଦେଶନାରେ ନିର୍ମିତ, ଛାୟାବାଣୀ ପ୍ରତିଷ୍ଠାନର ଓଡ଼ିଆଚଳଚ୍ଚିତ୍ର ଅଭିନେତ୍ରୀ ୧୯୬୫ ମସିହାରେ ମୁକ୍ତିଲାଭ କରିଥିଲା । ଏହି ଚଳଚ୍ଚିତ୍ରଟି କାହ୍ନୁ ଚରଣ ମହାନ୍ତିଙ୍କ ଉପନ୍ୟାସ "ଅଭିନେତ୍ରୀ" ଉପରେ ପର୍ଯ୍ୟବସିତ ।
ଜ୍ୟୋତିଷଶାସ୍ତ୍ର ଏକ ଛଦ୍ମ ବିଜ୍ଞାନ ଅଟେ, ଯାହା ଖଗୋଳିୟ ପିଣ୍ଡର ଚଳଣୀ ଏବଂ ସାପେକ୍ଷ ସ୍ଥିତିର ଅଧ୍ୟୟନ କରି ମନୁଷ୍ୟ ସମ୍ବନ୍ଧୀୟ ବିଷୟ ଏବଂ ସାଂସାରିକ ଘଟଣା ସମ୍ବନ୍ଧରେ ଦିବ୍ୟ କଥାବସ୍ତୁର ଦାବି କରିଥାଏ । ଏହି ଶାସ୍ତ୍ରଦ୍ୱାରା ମନୁଷ୍ୟ ତଥା ପୃଥିବୀର ଗ୍ରହ ଏବଂ ତାରାମାନଙ୍କର ଶୁଭ ତଥା ଅଶୁଭ ପ୍ରଭାବର ଅଧ୍ୟୟନ କରାଯାଇ ପାରେ । ଜ୍ୟୋତିଷ ଶବ୍ଦର ଅର୍ଥ ଗ୍ରହ ତଥା ନକ୍ଷତ୍ରଦ୍ୱାରା ସମ୍ବନ୍ଧିତ ରଖୁଥିବା ବିଦ୍ୟା । ଯଦିଓ ଏହି ଶବ୍ଦରୁ ଗଣିତ (ସିଦ୍ଧାନ୍ତ) ଜ୍ୟୋତିଷର ମଧ୍ୟ ବୋଧ ହୋଇଥାଏ, ତଥାପି ସାଧାରଣ ଲୋକ ଜ୍ୟୋତିଷ ବିଦ୍ୟାଦ୍ୱାରା ଫଳିତ ବିଦ୍ୟାର ଅର୍ଥ ବୋଲି ଭାବି ନିଅନ୍ତି।