ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଅସୀମା ପଣ୍ଡା ଜଣେ ଓଡ଼ିଆ କଣ୍ଠଶିଳ୍ପୀ । ସେ ମୁଖ୍ୟତଃ ଓଡ଼ିଆ ଏବଂ ସମ୍ବଲପୁରୀ ଗୀତ ଗାଆନ୍ତି । ଅସୀମା ଓଡ଼ିଆ ଆଲବମ୍, ଭଜନ ଓ କଥାଚିତ୍ର ଜଗତରେ ଜଣେ ଜଣାଶୁଣା ଗାୟିକା । ଅସୀମା ପଣ୍ଡା ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ଗାଇବା ଆରମ୍ଭ କରିଥିଲେ । ଓଡ଼ିଆ କଥାଚିତ୍ର ହରି ଓମ୍ ହରିରେ ସେ ପ୍ରଥମଥର ପାଇଁ ଓଡ଼ିଆ କଥାଚିତ୍ର ପାଇଁ ଗୀତ ଗାଇଥିଲେ ଏବଂ ଏହାପରେ ଗଞ୍ଜା ଲଢ଼େଇ, ୱାନ୍ ୱେ ଟ୍ରାଫିକ୍, ଗଞ୍ଜା ଲଢ଼େଇ, ଆଶିକ୍, ତୁ କହିବୁ ନା ମୁଁ, ତୁ ମୋର ସପନ ରାଣୀ, ପ୍ରେମର ନିଶା ନିଆରା ନିଆରା, ମୁଁ ପରଦେଶୀ ଚଢ଼େଇ, ତୁ ମୋ ସୁନା ଚଢ଼େଇ, ଫ୍ରମ୍ ମି ଟୁ ୟୁ, ଟାଇଗର, ଲଭ୍ ଟୁଇଷ୍ଟ, ମୁଁ ଖାଣ୍ଟି ଓଡ଼ିଆ ଝିଅ, ତୋ ପ୍ରେମରେ ପଡ଼ିଲା ପରେ, ଏମିତି ବି ହେଇପାରେ, ଅଭିମାନ, ମୁଇଁ ଦିୱାନା ତୁଇ ଦିୱାନୀ, ତୁ ମୋ ହିରୋ, ଅଦୃଶ୍ୟମ୍, ବାପା ତମେ ଭାରି ଦୁଷ୍ଟ, ଦେଲେ ଧରା କଥା ସରେ, ସୀତାରାମଙ୍କ ବାହାଘର କଳିଯୁଗରେ, ସେଲଫିସ୍ ଦିଲ୍, ଏକ୍ସକ୍ୟୁଜ ମି, ଲୋକାଲ ଟୋକା ଲଭ୍ ଚୋଖା, ପ୍ୟାର ଅଲଗା ପ୍ରକାର, ଲଭ୍ ଏକ୍ସପ୍ରେସ୍, ଟିକେ ଅନାଡ଼ି ପୂରା ଖିଲାଡ଼ି, ନାୟକର ନାଁ ଦେବଦାସ, ମିଠା ମିଠା, ଲୈଲା ଓ ଲୈଲା, ହାପି ଲକି, ହେଲୋ- ଇନ୍ ଲଭ୍, ଟୋକାଟା ଫସିଗଲା, ଯୋଗୀ, ବିଶ୍ୱରୂପ ଆଦି କଥାଚିତ୍ରରେ କଣ୍ଠଦାନ କରିଥିଲେ । ଅସୀମା ଓଡ଼ିଆ କଥାଚିତ୍ର ବ୍ୟତୀତ ବିଭିନ୍ନ ଆଲବମ୍ ଗୀତ ଏବଂ ଭଜନରେ କଣ୍ଠଦାନ କରିଛନ୍ତି । ପ୍ରାର୍ଥନା ଟିଭିରେ ପ୍ରସାରିତ ଭଜନ ଅନ୍ତାକ୍ଷରୀ, ପ୍ରାର୍ଥନା ମଞ୍ଚ ଭଳି କାର୍ଯକ୍ରମରେ ଭଜନ ପରିବେଷଣ କରନ୍ତି ।
ହ୍ୟୁମାନ ସାଗର (୨୫ ନଭେମ୍ବର ୧୯୯୦–୧୭ ନଭେମ୍ବର ୨୦୨୫) ଜଣେ ଓଡ଼ିଆ କଥାଚିତ୍ର ପ୍ରଚ୍ଛଦପଟ୍ଟ ଗାୟକ ଥିଲେ । ତାଙ୍କୁ ସ୍ଥାନୀୟ ଅଧିବାସୀ ଓଡ଼ିଶାର ଅରିଜିତ ସିଂହ କହି ମଧ୍ୟ ସମ୍ବୋଧନ କରିଥାନ୍ତି । ୨୦୧୨ ମସିହାରେ, ତରଙ୍ଗ ଚ୍ୟାନେଲରେ ପ୍ରସାରିତ ରିୟଲିଟି ସୋ ଭଏସ ଅଫ ଓଡ଼ିଶା ସିଜନ-୨ରେ ଜିତିକରି ସେ ଲୋକଲୋଚନକୁ ଆସିଥିଲେ । ସଂଗୀତ ପ୍ରତି ତାଙ୍କର ନିଶା ଯୋଗୁଁ ସେ ଡାକ୍ତରୀ ପାଠପଢ଼ା ଅଧାରୁ ଛାଡିଦେଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଅଭିଜିତ ମଜୁମଦାର (ଜନ୍ମ : ୧୧ ସେପ୍ଟେମ୍ବର ୧୯୭୧) ଜଣେ ଓଡ଼ିଆ କଥାଚିତ୍ର ସଙ୍ଗୀତ ନିର୍ଦ୍ଦେଶକ ଓ ଗାୟକ । ୨୦୦୦ ମସିହାରେ ସେ ଓଡ଼ିଆ କଥାଚିତ୍ର ଜଗତରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ଆରମ୍ଭ କରିଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଆଧୁନିକ ଆଲବମ୍, ଭଜନ, ସମ୍ବଲପୁରୀ ଆଲବମ୍, ଓଡ଼ିଆ ଧାରାବାହିକ ଆଦିର ଗୀତ ନିର୍ମାଣ କରନ୍ତି । ୧୯୯୧ ମସିହାରେ ଅଭିଜିତ ପ୍ରଥମ କରି ସଙ୍ଗୀତ ଜଗତରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ତାଙ୍କ ନିର୍ଦ୍ଦେଶିତ ପ୍ରଥମ ସମ୍ବଲପୁରୀ ଆଲବମ୍ ଥିଲା ଦକ୍ସି ଗଲା ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଜଗା ହାତରେ ପଘା, ୨୦୧୫ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର 'ତରଙ୍ଗ ସିନେ ପ୍ରଡକ୍ସନ'ର ୩ୟ ଚଳଚ୍ଚିତ୍ର ଥିଲା । ଜାଗି ମଙ୍ଗଦ ପଣ୍ଡା ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ । ନିର୍ମଳ ନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ମୂରଲି କ୍ରିଷ୍ଣା କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ କଥାଚିତ୍ରଟିର ଗୀତଗୁଡ଼ିକର ସ୍ୱର ସଂଯୋଜନା କରିଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ଓକିଲ, ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ଭାରତର ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବାରେ ତାଙ୍କର ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ" ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ମାର୍ଗଶୀର ମାସ ଚତୁର୍ଦ୍ଦଶୀ ତିଥିଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ଦେବଦୀପାବଳି ଉତ୍ସବ ଅନୁଷ୍ଠିତ ହୋଇଥାଏ । ସାଧାରଣ ହିନ୍ଦୁମାନେ ଯେପରି କାର୍ତ୍ତିକ ଅମାବାସ୍ୟା ତିଥି, ଦୀପାବଳି ଦିନ ନିଜ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରି ଦୀପଦାନ କରିଥାନ୍ତି, ଠିକ ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦ ତିଥିରେ ତିନିଦିନ ଧରି ପିତୃଗଣଙ୍କୁ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିଥାନ୍ତି ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ, କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ । ସେ ପଦାର୍ଥ ବିଜ୍ଞାନରେ ପ୍ରଥମ ଭାରତୀୟ ନୋବେଲ ପୁରସ୍କାର ବିଜେତା ଥିଲେ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ମଙ୍ଗଳୁ ଚରଣ ବିଶ୍ୱାଳ (୪ ମେ ୧୯୩୫–୧୧ ଜାନୁଆରୀ ୨୦୨୧) ଜଣେ ଭାରତୀୟ ସାହିତ୍ୟିକ ଓ ଶିକ୍ଷକ ଥିଲେ । ସେ ଓଡ଼ିଆ ଓ କୋଶଳୀ ଭାଷାରେ ସାହିତ୍ୟ ରଚନା ନିମନ୍ତେ ଜଣାଶୁଣା ଥିଲେ । ଶିକ୍ଷକତା ବୃତ୍ତିରେ ପାରଦର୍ଶିତା ନିମନ୍ତେ ସେ ରାଷ୍ଟ୍ରପତି ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ଗଳ୍ପ, କବିତା, ନାଟକ, ଶିଶୁସାହିତ୍ୟ ଆଦି ସାହିତ୍ୟର ବହୁ ବିଭାଗରେ ତାଙ୍କର ଅବଦାନ ରହିଥିଲା ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
ସରଳା ଦେବୀ (୯ ଅଗଷ୍ଟ ୧୯୦୪ - ୪ ଅକ୍ଟୋବର ୧୯୮୬ ) ଜଣେ ଭାରତୀୟ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଓ ଲେଖିକା ଥିଲେ । ବିଂଶ ଶତାବ୍ଦୀର ପ୍ରଥମ ଭାଗରେ ବ୍ରିଟିଶ ସରକାର ଅଧୀନରେ ଥିବା ବେଳେ ଭାରତରେ ନାରୀମାନଙ୍କର ସାମାଜିକ ଓ ରାଜନୈତିକ ଅଧିକାର ପାଇଁ ଆନ୍ଦୋଳନ ଆରମ୍ଭ ହେବା ସହ ନାରୀ ଶିକ୍ଷାର ପ୍ରଚାର ପ୍ରସାର ହୋଇଥିଲା । ସେହି ସମୟରେ ଏହାର ପ୍ରଭାବରେ ଓଡ଼ିଶାର ନାରୀନେତ୍ରୀ ରମାଦେବୀ, ମାଳତୀ ଚୌଧୁରୀ, ଗୋଦାବରୀ ଦେବୀ ପ୍ରମୁଖଙ୍କ ସହ ସେ ଭାରତର ସ୍ୱାଧୀନତା ଓ ନାରୀ ସ୍ୱାଧୀନତା ପାଇଁ ଲଢ଼ିଥିଲେ । ସେ ସତ୍ୟାଗ୍ରହରେ ଭାଗନେଇଥିବା ପ୍ରଥମ ଓଡ଼ିଆ ମହିଳା । ଇଞ୍ଚୁଡ଼ିଠାରେସେ ଲବଣ ସତ୍ୟାଗ୍ରହରେ ଭାଗନେଇଥିଲେ । ସ୍ୱାଧୀନତା ଆନ୍ଦୋଳନର ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସେ ଜେଲଦଣ୍ଡ ଭୋଗ କରିଥିଲେ ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରାଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢ଼ି ରଖିଦେଲି କିଏ ପଚାରିବ ମୂଲ !
ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ୟୁଷ୍ୟମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି । ମାର୍ଗଶୀର କୃଷ୍ଣ ଚତୁର୍ଦଶୀ ଦିନ ଅଦିତି କଶ୍ୟପଙ୍କ ଉଦ୍ଦେଶ୍ୟରେ , ଅମାବାସ୍ୟା ଦିନ ଦଶରଥ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ,ପ୍ରତିପଦା ଦିନ ବସୁଦେବ ଦେବକୀ, ନନ୍ଦ, ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ଦେବୀଙ୍କ ଉଦ୍ଦେଶ୍ୟରେ ପ୍ରଦୀପ ଉତ୍ସର୍ଗ କରନ୍ତି । ପ୍ରଥମ ଦିନରୁ ଦୀପାବଳି ଉତ୍ସବ ଆରମ୍ଭ ହୋଇ ତୃତୀୟ ଓ ଶେଷ ଦିନରେ ଶେଷ ଦୀପାବଳି ଉତ୍ସବ ପାଳନ କରାଯାଏ । ଏହି ଦିନମାନଙ୍କରେ ଶ୍ରୀଜଗନ୍ନାଥ ଶ୍ରାଦ୍ଧବେଶରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରୁଥିବାରୁ ଏହାକୁ ଦେବଦୀପାବଳି କୁହାଯାଏ । ଶ୍ରୀଜଗନ୍ନାଥଙ୍କ ପିତାମାତା ଯଥା ଦଶରଥ, ନନ୍ଦ, ବସୁଦେବଙ୍କ ଉଦ୍ଦେଶ୍ୟରେ ଦୀପଦାନ ପୂର୍ବକ ସେ ଶ୍ରାଦ୍ଧତ୍ସବ ପାଳନ କରିଥାନ୍ତି । ଇନ୍ଦ୍ରଦ୍ୟୁମ୍ନଙ୍କୁ ଏହି ଦିନ ମହାପ୍ରଭୁ ଦୀପଦାନ ଦେଇଥାନ୍ତି । ଅଦିତି ଦକ୍ଷ ପ୍ରଜାପତିଙ୍କ କନ୍ୟା । ମହର୍ଷି କଶ୍ୟପ ଏହାନକ୍ ସ୍ୱାମୀ । ଇନ୍ଦ୍ରାଦି ଦେବତାମାନେ ଓ ବାମନ ଅବତାରରେ ବିଷ୍ଣୁ ଅଦିତି ଗର୍ଭରୁ ଜନ୍ମ ହୋଇଥିବାରୁ ଅଦିତି-କଶ୍ୟପ ଭଗବାନଙ୍କ ପିତାମାତା । ଜଗନ୍ନାଥ ଏମାନଙ୍କୁ ଶ୍ରାଦ୍ଧ ଦିଅନ୍ତି । ନିର୍ବଂଶ ହୋଇଯିବା ପାଇଁ ବରମାଗିଥିବା ରାଜା ଇନ୍ଦ୍ରଦ୍ୟୁମ୍ନଙ୍କୁ ମଧ୍ୟ ଜଗନ୍ନାଥ ନିଜେ ଶ୍ରାଦ୍ଧ ଦେଉଥିବା ମତ ରହିଛି ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଆର୍ତ୍ତବଲ୍ଲଭ ମହାନ୍ତି (୩୦ ଜୁଲାଇ ୧୮୮୭–୩୦ ସେପ୍ଟେମ୍ବର ୧୯୬୩) ଜଣେ ଓଡ଼ିଆ ଲେଖକ, ଶିକ୍ଷାବିତ୍ ଓ ପ୍ରଫେସର ଥିଲେ । ସେ ପ୍ରାଚୀ ସମିତିର ପ୍ରତିଷ୍ଠାତା ଥିଲେ । ପୁରାତନ ଓଡ଼ିଆ ରଚନାବଳୀରେ ଥିବା ଶୁଦ୍ଧ ସଂସ୍କରଣର ଅଭାବ ଦେଖି ସେ ନିଜେ ଅନେକ ପୋଥି ପଢ଼ି ଓ ଗବେଷଣା କରି ବିଦଗ୍ଧ ଚିନ୍ତାମଣି, ମଥୁରା ମଙ୍ଗଳ ସମେତ ଅନ୍ୟାନ୍ୟ ଗ୍ରନ୍ଥର ଶୁଦ୍ଧ ସଂସ୍କରଣ ପ୍ରାଚୀ ସମିତିଦ୍ୱାରା ପ୍ରକାଶ କରିଥିଲେ । ପରବର୍ତ୍ତୀ ସମୟରେ ପ୍ରାଚୀ ସମିତି ତାହାର ପ୍ରକାଶିତ ଅନେକ ପୁରୁଣା ଗ୍ରନ୍ଥ ଓ ତାଳପତ୍ର ପୋଥିଗୁଡ଼ିକ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଅର୍ପଣ କରିଥିଲା । ଉତ୍କଳ ବିଶ୍ୱବିଦ୍ୟାଳୟ ଏଗୁଡ଼ିକୁ ପ୍ରାଚୀ ଗ୍ରନ୍ଥମାଳା ନାମରେ ପ୍ରକାଶିତ କରିଥିଲା । ଭାରତ ସରକାର ତାଙ୍କୁ ୧୯୬୦ ମସିହାରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରିଥିଲା । ଏହା ପୂର୍ବରୁ ସେ ୧୯୩୨ରେ ରାୟ ସାହେବ ଓ ୧୯୪୩ରେ ରାୟ ବାହାଦୁରରେ ଉପାଧୀ ମଧ୍ୟ ପାଇଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ହରପ୍ପା ( Punjabi pronunciation: [ɦəɽəppaː] ; ଉର୍ଦ୍ଦୁ / Punjabi ) ପାକିସ୍ତାନର ପଞ୍ଜାବର ଏକ ପ୍ରତ୍ନତାତ୍ତ୍ୱିକ ସ୍ଥାନ, ସାହିୱାଲର ପ୍ରାୟ 24 km (15 mi) ପଶ୍ଚିମରେ ଏହି ସାଇଟ୍ ରବି ନଦୀର ପୂର୍ବ ପଥ ନିକଟରେ ଅବସ୍ଥିତ । ରବି ନଦୀ ନିକଟରେ ଅବସ୍ଥିତ ଏକ ଆଧୁନିକ ଗାଁରୁ ଏହାର ନାମକରଣ ହୋଇଛି । ରବି ନଦୀ ବର୍ତ୍ତମାନ 8 km (5.0 mi) ଉତ୍ତରରେ ଚାଲୁଛି । ହରପ୍ପାର ପ୍ରାଚୀନ ସ୍ଥାନଟି ବର୍ତ୍ତମାନର ହରପ୍ପା ଗାଁରୁ 1 km (0.62 mi)ରୁ କମ୍ ଦୂରରେ ଅବସ୍ଥିତ । ଯଦିଓ ଆଧୁନିକ ହରପ୍ପା ବ୍ରିଟିଶ ରାଜ ସମୟରୁ ଏକ ପୁରୁଣା ରେଳ ଷ୍ଟେସନ ଅଛି, ଏହା ଆଜି ୧୫,୦୦୦ ଲୋକଙ୍କ ଏକ ଛୋଟ ଛକ ସହର ଅଟେ ।