ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ବିଶ୍ୱ ଏଡ୍ସ ଦିବସ, ଡିସେମ୍ବର ୧ରେ ପ୍ରତିବର୍ଷ ପାଳିତ ହୋଇଥାଏ । ଏହା ଏଡ୍ସ (AIDS)ର ସଂକ୍ରମଣକୁ ପ୍ରତିରୋଧ କରିବା ନିମନ୍ତେ ପାଳନ କରାଯାଇଥାଏ । ସରକାରୀ ଓ ସ୍ୱାସ୍ଥ୍ୟ କର୍ମଚାରୀମାନେ ଏହି ଦିନଟିକୁ ଏଡ୍ସ ବାବଦରେ ଭାଷଣ ଦେଇ ଜନସଚେତନତା ତିଆରି କରି ପାଳନ କରିଥାନ୍ତି । ୧୯୯୫ଠାରୁ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଏହାକୁ ସରକାରୀ ତାଲିକାଭୁକ୍ତ କରିଥିଲେ । ବାକି ଦେଶରେ ମଧ୍ୟ ଏହି ଦିନ ଏଡ୍ସ ଦିବସ ପାଳନ କରାଯାଇଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପ୍ୟୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ୱୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ନେତୃତ୍ୱକୁ ଜଣେ ବ୍ୟକ୍ତି ବିଶେଷର ସାମାଜିକ ପ୍ରଭାବ ପ୍ରାପ୍ତ କରିବାର ଏକ ପ୍ରକ୍ରିୟା ରୂପେ ବର୍ଣ୍ଣନା କରାଯାଇଛି ଯେଉଁଥିରେ ସେ ଅନେକ ଲୋକଙ୍କର ସାହାଯ୍ୟ ଓ ସମର୍ଥନରେ ଗୋଟିଏ ସାମୁହିକ କାର୍ଯ୍ୟ ହାସଲ କରିଥାଏ ।}} ଉଦାହରଣ ସ୍ୱରୂପ କିଛି ଲୋକ ନେତୃତ୍ୱମାନେ ବୁଝନ୍ତି କେବଳ ଯଦି କୌଣସି ବ୍ୟକ୍ତିକୁ କିଛି ଲୋକ ଅନୁସରଣ କଲେ ,ଅଥବା କେହି ଯଦି ମାର୍ଗଦର୍ଶନ ବା ଦିଗ ପ୍ରଦର୍ଶନ କରନ୍ତି, ଆଉ ଅନେକ ମଧ୍ୟ ଚିନ୍ତା କରନ୍ତି ଯେ ନେତୃତ୍ୱ "ଜନସମୂହକୁ ଏକ ସାମୁହିକ ଲକ୍ଷ ପାଇଁ ଏକତ୍ରିତ କରିବା" ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବବି ମିଶ୍ର ଜଣେ ଓଡ଼ିଆ କଥାଚିତ୍ର, ଦୂରଦର୍ଶନ ଏବଂ ଆଲବମ୍ ଗୀତ ଅଭିନେତା । ବବି ମିଶ୍ର ଓଡ଼ିଆ କଥାଚିତ୍ର ଜଗତରେ ହାସ୍ୟ ଅଭିନେତା, ସହ ଅଭିନେତା ଏବଂ ଖଳନାୟକ ଭାବରେ ଅଭିନୟ କରିଛନ୍ତି । ସେ ଓଡ଼ିଆ ଆଧୁନିକ ଆଲବମ୍ର ଅନେକ ଗୀତରେ ନୃତ୍ୟ କରିଥିଲେ । ୧୯୯୯ ମସିହାରେ ଜୟ ଶ୍ରୀରାମ ଚଳଚ୍ଚିତ୍ରରେ ସେ ପ୍ରଥମ କରି ଅଭିନୟ ଦୁନିଆରେ ପ୍ରବେଶ କରିଥିଲେ । ଏହାପରେ ସେ ଚଳଚ୍ଚିତ୍ର ସହ ଦୂରଦର୍ଶନର ଧାରାବାହିକରେ ମଧ୍ୟ ଅଭିନୟ କରିଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜୀବସାର 'କ' (English: Vitamin A: ଭିଟାମିନ ଏ) ଆକ୍ଷିରେ ଥିବା ରେଟିନା ନିମନ୍ତେ ଅତ୍ୟାବଶ୍ୟକୀୟ ପୋଷକ ଅଟେ । ଏହା ଉଭୟ କମ୍ ଆଲୋକରେ ଦେଖିବା ପାଇଁ ଓ ବର୍ଣ୍ଣ ଚିହ୍ନିବା(ରଙ୍ଗ ଚିହ୍ନିବା) ପାଇଁ ଆବଶ୍ୟକୀୟ ଅଟେ ।ଜୀବ ଶରୀରରୁ ଜାତ ଖାଦ୍ୟରେ ଜୀବସାର 'କ' , ଇଷ୍ଟର ଅବସ୍ଥାରେ ମିଳେ ; ଯାହାକି ପରେ କ୍ଷୁଦ୍ରାନ୍ତରେ (small intestine) ରେଟିନୋଲରେ ବଦଳିଯାଏ । ରେଟିନୋଲ (Retinol) ରାସାୟନିକ ସଂରଚନା ଅନୁଯାୟୀ ଏକ ସୁରାସାର (Alcohol) ଅଟେ । ଏହି ରେଟିନୋଲ ଶରୀରରେ ସଞ୍ଚୟ ଅବସ୍ଥା ଅଟେ , ଯାହାକି ପରେ ଆଲ୍ଡିହାଇଡ୍ ଅବସ୍ଥାକୁ ରୂପାନ୍ତରିତ ହୋଇଥାଏ : ରେଟିନାଲ ।
ଭୀମ ସିଂ ( ୧୩ ନଭେମ୍ବର ୧୯୩୪ - ୨୧ ଅଗଷ୍ଟ ୨୦୧୦) ଓଡ଼ିଆ ନାଟକ , ଆକାଶବାଣୀ, ଦୂରଦର୍ଶନ ଓ କଥାଚିତ୍ର ଜଗତର ଜଣେ ଜଣାଶୁଣା ଅଭିନେତା । ଅଭିନେତା ଓ ସହକାରୀ/ ସହଯୋଗୀ ନିର୍ଦ୍ଦେଶକ ଭାବେ ସେ ଓଡ଼ିଶାର ବିଶିଷ୍ଟ ନିର୍ଦ୍ଦେଶକ ନିତାଇ ପାଲିତଙ୍କ ସହ ବହୁ ଓଡ଼ିଆ କଥାଚିତ୍ରରେ କାମ କରିଥିଲେ । ଚିତ୍ରନାଟ୍ୟ, ସଂଳାପ ଲିଖନ କ୍ଷେତ୍ରରେ ସେ ବହୁତ ଫିଲ୍ମ ସହିତ ସଂଶ୍ଳିଷ୍ଟ ଥିଲେ । ଏତତ ବ୍ୟତୀତ ସେ ବହୁ ପ୍ରାମଣିକ (documentary) ଚଳଚ୍ଚିତ୍ର ପାଣ୍ଡୁଲିପି ଲେଖିବା ସହ ଓଡ଼ିଆ ନାଟକ, ସଂଗୀତ, ଭକ୍ତିକଥା, ଲୋକ ପରମ୍ପରା ସମ୍ପର୍କରେ ବହୁ ଉଚ୍ଚକୋଟିର ପ୍ରବନ୍ଧ ମାନ ଲେଖିଛନ୍ତି । ୨୦୦୮ରେ ତାଙ୍କ ସଂକଳିତ "ଓଡ଼ିଆ ଚଳଚ୍ଚିତ୍ରର ଅଜ୍ଞାତ ଅଧ୍ୟାୟ" ଓଡ଼ିଆ ସିନେମା ବିଶେଷ କରି ପୁରୁଣା ସିନେମାର ଏକ ଜ୍ଞାନକୋଷ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସୁବ୍ରତ ସ୍ୱାଇଁ ଜଣେ ଓଡ଼ିଆ କଥାଚିତ୍ରର ଗୀତିକାର । ସୁବ୍ରତଙ୍କୁ ୨୦ ବର୍ଷ ହେବା ଆଗରୁ ସେ ଗୀତ ଲେଖିବା ଆରମ୍ଭ କରିଥିଲେ । ୨୦୦୦ ମସିହାରେ ତାଙ୍କ ଲିଖିତ ଜଗନ୍ନାଥ ଭଜନ ‘ବାଉଁଶ ପତର ସରୁ ଲୋ ଝାଇଁ ଝୁମୁରୁ…’ ଗୀତଟି ଲୋକପ୍ରିୟ ହେବା ପରେ ସୁବ୍ରତ ଲୋକଲୋଚନକୁ ଆସିଥିଲେ । ସୁବ୍ରତଙ୍କ ଏହି ଗୀତରେ କଣ୍ଠଦାନ କରିଥିଲେ ହିନ୍ଦୀ କଥାଚିତ୍ର ଜଗତର ଜଣାଶୁଣା ଗାୟକ ମହମ୍ମଦ ଅଜିଜ୍ । ୨୦୦୮ ମସିହାରେ ସୁବ୍ରତ ଓଡ଼ିଆ କଥାଚିତ୍ର ଜଗତରେ ଚଳଚ୍ଚିତ୍ର ଗୀତ ଲେଖିବା ଆରମ୍ଭ କରିଥିଲେ । ଚିତ୍ତରଞ୍ଜନ ତ୍ରିପାଠୀଙ୍କ ନିର୍ଦ୍ଦେଶିତ ଓଡ଼ିଆ କଥାଚିତ୍ର ମୁଖ୍ୟମନ୍ତ୍ରୀରେ ଗୀତ ରଚନା କରିଥିଲେ ସୁବ୍ରତ । ଏହାପରେ ସେ ୨୦୧୦ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ପ୍ରେମ ଅଢ଼େଇ ଅକ୍ଷରରେ ଗୀତ ରଚନା କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଭାରତୀୟ ଲୋଟଣୀ, ଭଦଭଦଳିଆ ଚଢ଼େଇ ଓଡ଼ିଶାର ଗର୍ବ ଓ ସଙ୍କେତ ଅଟେ । ଏହାକୁ ଓଡ଼ିଶାର ରାଜ୍ୟ ପକ୍ଷୀ (State Bird of Odisha) ଭାବେ ଘୋଷଣା କରାଯାଇଅଛି । ଏହି ପକ୍ଷୀ ମୁଖ୍ୟତଃ ଭାରତୀୟ ଉପମହାଦେଶରେ ଦେଖିବାକୁ ମିଳିଥାଏ । ଏହାଛଡା ଥାଇଲାଣ୍ଡ ଓ ଇରାକରେ ମଧ୍ୟ ଏମାନେ ଦେଖା ଯାଆନ୍ତି । ଭାରତର ଅନେକ ରାଜ୍ୟ ଏହି ପକ୍ଷୀକୁ ସେମାନଙ୍କର ରାଜ୍ୟ ପକ୍ଷୀ ଭାବେ ଘୋଷଣା କରିଛନ୍ତି ।
ପଣ୍ଡିତ ଭୀମସେନ ଜୋଶୀ (4 February 1922 – 24 January 2011) କର୍ଣ୍ଣାଟକରେ ଜନ୍ମିତ ଜଣେ ପ୍ରସିଦ୍ଧ ହିନ୍ଦୁସ୍ଥାନୀ ଶୈଳୀର ଶାସ୍ତ୍ରୀୟ ସଂଗୀତ ଗାୟକ । ଖୟାଲୀ ରାଗର ତଥା ଭକ୍ତି ସଂଗୀତ ଗାନ କ୍ଷେତ୍ରରେ ସେ ଜଣେ ପ୍ରମୁଖ ଗାୟକ । ୧୯୯୮ରେ ସେ କଳା, ସଂଗୀତ ଓ ନାଟକ କ୍ଷେତ୍ରରେ ସଂଗୀତ ନାଟକ ଏକାଡେମୀଦ୍ୱାରା ସଂଗୀତ ନାଟକ ଏକାଡେମୀ ଫେଲୋଶିପଦ୍ୱାରା ସମ୍ମାନିତ ହୋଇଥିଲେ । ପରେ ପରେ ୨୦୦୯ ମସିହାରେ ସେ ଭାରତର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନଦ୍ୱାରା ସମ୍ମାନିତ ହୋଇଥିଲେ ।
ନାରାୟଣ ସାହୁ (ଜନ୍ମ ୨୫ ନଭେମ୍ବର ୧୯୫୫) ଜଣେ ଓଡ଼ିଆ ଅଧ୍ୟାପକ ଓ ନାଟ୍ୟକାର । ଏଯାବତ ତାଙ୍କର ୨୦ରୁ ଉର୍ଦ୍ଧ ନାଟକ ପ୍ରକାଶିତ ହୋଇସାରିଛି । ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ସେ ଅଧ୍ୟାପନା କରିଛନ୍ତି । ତାଙ୍କର ନାଟକ ଆଶ୍ରା ଖୋଜି ବୁଲୁଥିବା ଇଶ୍ୱର ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଆକାଶବାଣୀ ନାଟ୍ୟକାର ପୁରସ୍କାର, ଝଙ୍କାର ନାଟକ ପୁରସ୍କାର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଗିରିବାଳା ମହାନ୍ତି ଜଣେ ଭାରତୀୟ-ଓଡ଼ିଆ ବୈମାନିକ ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ବୈମାନିକ । ଉଡ଼ାଜାହାଜ ଚଳାଇବା ନିମନ୍ତେ ବେସରକାରୀ ଲାଇସେନ୍ସ ଥିବା ସେ ପ୍ରଥମ ଓଡ଼ିଆ ମହିଳା । ୧୯୬୭ରେ ସେ ନାଇଣ୍ଟି-ନାଇନଇଙ୍କ, "ଇଣ୍ଟରନ୍ୟାସନାଲ ଉଇମେନ ପାଇଲଟ ଆସୋସିଆଏସନ"ଦ୍ୱାରା ସେମାନଙ୍କ ଏକ ବିଶ୍ୱସ୍ତରୀୟ ସମ୍ମିଳନୀରେ ଯୋଗଦେବା ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାକୁ ଆମନ୍ତ୍ରିତ ହୋଇଥିଲେ । ସେଠାରେ ଆମେରିକା ଉପରେ ଏକ ପରିଚାଳିତ ଉଡ଼ାଣରେ ବାକି ମହିଳା ବୈମାନିକଙ୍କ ସହ ଯୋଗଦେଇଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ପଟ୍ଟଚିତ୍ର ଓଡ଼ିଶାର ଏକ ପାରମ୍ପାରିକ ଚିତ୍ରକଳା । ଏହା ପ୍ରଧାନତଃ ଜଗନ୍ନାଥ ତଥା ହରି ଓ ରାଧାଙ୍କ ପ୍ରେମକଥାର ବର୍ଣ୍ଣନାକୁନେଇ ଅଙ୍କାଯାଇଥାଏ । ପଟ୍ଟଚିତ୍ରସବୁ ଜଗନ୍ନାଥ ସଂସ୍କୃତିକୁ ନେଇ ସୃଷ୍ଟି ହୋଇଛି । ଏହା ଓଡ଼ିଆ ଚିତ୍ରକରମାନଙ୍କ ଦେଇ ନାନାଦି ପ୍ରାକୃତିକ ରଙ୍ଗର ବ୍ୟବହାର କରି ପଟ୍ଟ ବା ମଣ୍ଡଦିଆ କନା ଉପରେ ଅଙ୍କାଯାଇଥାଏ । ଏହା ଓଡ଼ିଶାର ଏକ ମୁଖ୍ୟ ଓ ବହୁ ପୁରାତନ କଳା । ପଟ୍ଟ ଶବ୍ଦର ଅର୍ଥ କନା, ଏକ ବିଶେଷ କନା ଉପରେ ଅଙ୍କିତ ଏହି ବିଶେଷ ଧରଣର ଚିତ୍ରକୁ ପଟ୍ଟଚିତ୍ର କୁହାଯାଇଥାଏ । ଏଥିରେ ନାନା ପ୍ରକାରର ଆଧ୍ୟାତ୍ମିକ ଛବି ଅଙ୍କାଯାଇଥାଏ । ପଟ୍ଟଚିତ୍ରର ଇତିହାସ ହଜାରେ ବର୍ଷରୁ ଅଧିକ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ (ଜନ୍ମ: ୪ ଜାନୁଆରୀ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ବଜରଙ୍ଗ ଦଳ, ରାଷ୍ଟ୍ରୀୟ ସ୍ୱୟଂସେବକ ସେନା, ବିଶ୍ୱ ହିନ୍ଦୁ ପରିଷଦ ଓ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ଏବଂ ଅଧୁନା ଭାରତୀୟ ସଂସଦର ତଳ ସଦନ ଲୋକ ସଭାରେ ଜଣେ ସାଂସଦ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪ ଓ ୨୦୦୯ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୀଳଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ ଭାରତୀୟ ସାଧାରଣ ନିର୍ବାଚନରେ ସେ ବାଲେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଜଣେ ରାଷ୍ଟ୍ରମନ୍ତ୍ରୀ ଭାବରେ, "ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ" ଏବଂ "ଦୁଗ୍ଧ, ପଶୁପାଳନ ଓ ମତ୍ସ୍ୟପାଳନ" ମନ୍ତ୍ରାଳୟର ଦାୟିତ୍ୱରେ ଅଛନ୍ତି । ୨୦୧୯ ଭାରତୀୟ ନିର୍ବାଚନ ସମୟରେ ତାଙ୍କୁ ତାଙ୍କ ସମର୍ଥକମାନେ "ଓଡ଼ିଶାର ମୋଦୀ" ନାମରେ ଡାକିଥିଲେ ।
ରାଜଶ୍ରୀ ମଲ୍ଲିକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ରାଜଶ୍ରୀ ଓଡ଼ିଶା ବିଧାନ ସଭାରେ ଜଣେ ସଭ୍ୟା ଭାବରେ କାର୍ଯ୍ୟ କରୁଛନ୍ତି । ସେ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ତିର୍ତ୍ତୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ି ୩୫,୪୪୮ ଖଣ୍ଡ ଭୋଟରେ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ ସାଧାରାଣ ନିର୍ବାଚନରେ ସେ ବିଜେପିର ବିଭୁ ପ୍ରସାଦ ତରାଇଙ୍କୁ ୨,୭୧,୬୫୫ ଖଣ୍ଡ ଭୋଟରେ ହରାଇ ଜଗତସିଂହପୁର ନିର୍ବାଚନ ମଣ୍ଡଳୀରୁ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
କାଶ: (ଉଚ୍ଚାରଣ ଲାଟିନ ଭାଷାରେ ଟସିସ୍: tussis) ଏହା ଏକ ପୁନଃ ପୁନଃ ହେଉଥିବା ରିଫ୍ଲେକ୍ସ (Reflex) ଯାହା ଶ୍ୱାସ ନଳୀରେ ଥିବା ସ୍ରାବ, ବହିସ୍ଥ କଣିକା, ଉତ୍ତେଜକ ପଦାର୍ଥ ଓ [[]]ଜୀବାଣୁ ଇତ୍ୟାଦିଙ୍କୁ ବାହାର କରିବାରେ ସହାଯ୍ୟ କରେ । ଏହା ଏକ ତିନି ଥାକିଆ ପ୍ରଣାଳୀ: ପ୍ରଥମେ ପ୍ରଶ୍ୱାସ ନିଆଯାଏ (Inhalation), ତା ପରେ ଗ୍ଲଟିସ (Glottis) ବନ୍ଦଥାଇ ଚାପଯୁକ୍ତ ନିଶ୍ୱାସ ଛଡ଼ାଯାଏ ଓ ଗ୍ଲଟିସ ଖୋଲିବା ସହ ପ୍ରବଳ ବେଗରେ ସ୍ୱତନ୍ତ୍ର ଶବ୍ଦ ସହ ବାୟୁ ନିର୍ଗତ କରାଯାଏ । କାଶ ଇଚ୍ଛାକୃତ ବା ଅନିଚ୍ଛାକୃତ ହୋଇପାରେ । ବାରମ୍ବାର କାଶିବାକୁ ଏକ ରୋଗର ଲକ୍ଷଣ ରୂପେ ବିବେଚନା କରାଯାଏ । ଅନେକ ଜୀବାଣୁ ଓ ଭୁତାଣୁ କାଶଦ୍ୱାରା ରୋଗ ବ୍ୟାପିବାରେ ସାହାଯ୍ୟ କରନ୍ତି ଓ ଅନ୍ୟ ସୁସ୍ଥ ଲୋକ ସଂକ୍ରମିତ ହୁଅନ୍ତି । ଅଧିକାଂଶ ସମୟରେ ଶ୍ୱାସନଳୀ ସଂକ୍ରମଣଦ୍ୱାରା କାଶ ହୁଏ କିନ୍ତୁ ଧୁଆଁ, ବାୟୁ ଅପମିଶ୍ରଣ, ଆଜ୍ମା, କ୍ରନିକ ବ୍ରୋଙ୍କାଇଟିସ୍, ଫୁସ୍ଫୁସ୍ ଅର୍ବୁଦ (Tumour), ହୃଦ୍ଘାତ, ଗ୍ୟାସ୍ଟ୍ରୋଏସୋଫେଜିଆଲ୍ ରିଫ୍ଲକ୍ସ ରୋଗ ( gastroesophageal reflux disease) ଓ ଏ.ସି.ଇ.
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ଼ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।