ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ପଞ୍ଚକ ବା ପଞ୍ଚୁକ ଓଡ଼ିଶାରେ ପାଳିତ ଏକ ହିନ୍ଦୁ ପର୍ବ । ଏହା କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ) ଭାବେ ପାଳନ କରାଯାଏ । ଏହା ମହାପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ସାତ୍ତ୍ୱିକ ଖାଦ୍ୟ ଆହାର କରିଥାନ୍ତି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମୀୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଟକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ୍ୟ ଓ ଅନ୍ତର୍ଲକ୍ଷ୍ୟ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ୍ୟ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପୀର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲାହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଶାସନର ଉତ୍ଥାନ କାଳରେ ବୋଇତସବୁ ପୁରାତନ କଳିଙ୍ଗରେ ତିଆରି ବିଶାଳ ନାଆ ଓ ଜାହାଜକୁ ବୁଝାଇଥାଏ । କଳିଙ୍ଗର ସମୁଦ୍ରମୁଖୀ ଅଞ୍ଚଳ ଯଥା ଓଡ଼ିଶା ଓ ପଶ୍ଚିମ ବଙ୍ଗ ଓ ଆନ୍ଧ୍ର ପ୍ରଦେଶରେ ଅନେକ ପ୍ରମୁଖ ବନ୍ଦର ଥିବା ହେତୁ ସେଠାରେ ବୋଇତସବୁ ବ୍ୟବହାର କରାଯାଉଥିଲା । ପୁରାତନ ବଣିକମାନେ କଳିଙ୍ଗରୁ ଏହି ବୋଇତରେ ବାଲି, ଜାଭା, ସୁମାତ୍ରା, ବୋର୍ଣ୍ଣିଓ, ଶ୍ରୀଲଙ୍କା, ମାଲେସିଆ, ଭିଏତନାମ, ଥାଇଲାଣ୍ଡ, କାମ୍ବୋଡ଼ିଆ, ଫିଲିପାଇନ୍ସ ଓ ଚୀନ ଆଦି ଦୂର ଦେଶମାନଙ୍କୁ ବେପାର ବଣିଜ ଓ ସାଂସ୍କୃତିକ କାରବାର ପାଇଁ ଯାତ୍ରା କରୁଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭଞ୍ଜ କିଶୋର ପଟ୍ଟନାୟକ(୧୩ ନଭେମ୍ବର ୧୯୨୨ - ୨୭ ନଭେମ୍ବର ୧୯୯୯) ଜଣେ ଓଡ଼ିଆ ନାଟ୍ୟକାର ଥିଲେ । ସ୍ୱାଧୀନତା ପରବର୍ତ୍ତୀ ସମୟରେ ସେ ଓଡ଼ିଶାର ଜଣେ ଅଗ୍ରଣୀ ନାଟ୍ୟକାର ଥିଲେ । ସେ ୩୫ଟି ନାଟକ, ୮ଟି ଏକାଙ୍କିକା, ୪ଟି କ୍ଷୁଦ୍ରଗଳ୍ପ ପୁସ୍ତକ, କବିତା ଓ "ମରୁପଥୀକ" ନାମରେ ଏକ ଉପନ୍ୟାସ ରଚନା କରିଥିଲେ । ତାଙ୍କର ୧୨ଟି ନାଟକ ବେତାର ଓ ଦୂରଦର୍ଶନରେ ମଧ୍ୟ ପ୍ରସାରିତ ହୋଇଛି । "ଅଗ୍ନି-ପରୀକ୍ଷା" ନାଟକ ପାଇଁ ସେ ୧୯୫୮ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ । "ଜୀବନର ଜୟଯାତ୍ରା" ତାଙ୍କର ଆତ୍ମଜୀବନୀ ।
ବ୍ୟାଡ଼ମିଣ୍ଟନ ଏକ ରେକେଟ ଖେଳ । ଏହି ଖେଳକୁ ଏକ ଜାଲି ଉପରେ ରେକେଟଦ୍ୱାରା ପରଯୁକ୍ତ କକ୍କୁ ମାରି ଖେଳାଯାଏ । ଏହି ଖେଳର ନିୟମ ହେଉଛି ସିଙ୍ଗଲସ୍ (ଗୋଟିଏ ଦଳ ପ୍ରତି ଗୋଟିଏ ଖେଳାଳୀ) ଓ ଡବଲସ୍ (ଗୋଟିଏ ଦଳ ପ୍ରତି ଦୁଇଟି ଖେଳାଳୀ) । ଏହି ଖେଳ ସାଧାରଣତଃ ଘର ବାହାରେ ଖେଳାଯାଏ । ନିୟମ ଅନୁଯାୟୀ ଏହି ଖେଳ ଏକ ୟାର୍ଡ଼ ଆୟତାକର କ୍ଷେତ୍ରରେ ଖେଳାଯାଏ । ପରଯୁକ୍ତ କକ୍କୁ ରେକେଟରେ ମାରି ବିପରୀତ ଦଳ ପଟେ ଜମିରେ ଏବଂ ନିର୍ଦ୍ଧାରିତ ସୀମା ରେଖା ମଧ୍ୟରେ ପକାଇ ପାରିଲେ ଏକ ପଏଣ୍ଟ ହିସାବ କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମାନସିକ କଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଘାସିରାମ ମାଝି (୧୭ ଜୁଲାଇ ୧୯୨୪ - ୨୩ ଅପ୍ରେଲ ୧୯୯୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସାତ ଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧, ୧୯୭୧, ୧୯୭୭, ୧୯୮୫, ୧୯୯୦ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ, ୫ମ, ୭ମ, ୯ମ, ୧୦ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଶିବପୁତ୍ର କାର୍ତ୍ତିକେୟଙ୍କ ଗୁଣ କୀର୍ତ୍ତି ସମ୍ପୂର୍ଣ୍ଣ ଅଲଗା ବୋଲି ତାଙ୍କ ନାମ ଅନୁସାରେ କାର୍ତ୍ତିକ ମାସର ପ୍ରଚଳନ ଅଛି। କାରଣ ଶିବ ପାର୍ବତୀଙ୍କ ଔରସରୁ ଜାତ ପୁତ୍ର ହିଁ ତାରକାସୁରକୁ ନିଧନ କରିବ ଶିବ ପାର୍ବତୀଙ୍କ ବିବାହ ପରେ ଶୃଙ୍ଗାର ସମୟରେ ସେଠାରେ ବିଷ୍ଣୁ ପହଞ୍ଚିବା କ୍ଷଣି ମା’ ପାର୍ବତୀ ଅତ୍ୟନ୍ତ ଲଜ୍ଜିତ ହୋଇ ବିଷ୍ଣୁଙ୍କୁ ଅଶ୍ୱତ୍ଥ ବୃକ୍ଷ ଓ ଶିବଙ୍କୁ ବଟବୃକ୍ଷ ହୁଅ ବୋଲି ଅଭିଶାପ ଦେଲେ। ଏଣେ ଶିବଙ୍କର ରେତ ସ୍ଖଳନ ହେବା କ୍ଷଣି ଗଙ୍ଗାନଦୀ ତାକୁ ବହନ କରିନେବା ସମୟରେ କୃତ୍ତିକାଦି ଷଢ଼ ଦେବକନ୍ୟା ଗଙ୍ଗାରେ ସ୍ନାନ ସମୟରେ ସେମାନଙ୍କ ମୁଖରେ ରେତ ସ୍ଥାପନ ହେବାରୁ ସେମାନେ ଅନ୍ତସତ୍ତ୍ୱା ହେଲେ ଏବଂ ସେମାନଙ୍କଠାରୁ ଷଡ ମୁଖଧାରୀ କାର୍ତ୍ତିକେୟଙ୍କର ଜନ୍ମ ଶିବପାର୍ବତୀଙ୍କ ଅଗୋଚରରେ ସ୍ୱର୍ଗରେ ହେଲା। ସେ ବଡ଼ ହୋଇ ସ୍ୱର୍ଗରେ ଦେବତାଙ୍କ ସେନାପତି ହୋଇ ବ୍ରହ୍ମଚାରୀ ଜୀବନ କଟାଇଥିଲେ ଓ ମୟୁର ଯିଏକି ଆଜନ୍ମ ବ୍ରହ୍ମଚାରୀ ତାଙ୍କର ବାହାନ ହୋଇ ତାରକାସୁରକୁ ହତ୍ୟା କରିଥିଲେ।
ନରେନ୍ଦ୍ର ଦାମୋଦର ଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଜଣେ ଭାରତୀୟ ରାଜନୀତିଜ୍ଞ ଏବଂ ୨୦୧୪ ମସିହାରୁ ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ମୋଦୀ ୨୦୦୧ରୁ ୨୦୧୪ ପର୍ଯ୍ୟନ୍ତ ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ ଏବଂ ବାରଣାସୀର ସାଂସଦ ଥିଲେ । ସେ ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ ଦକ୍ଷିଣପନ୍ଥୀ ହିନ୍ଦୁ ଜାତୀୟତାବାଦୀ ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସଦସ୍ୟ । ସେ ଭାରତୀୟ ଜାତୀୟ କଂଗ୍ରେସ ବାହାରେ ସର୍ବାଧିକ କାଳ ଧରି ଥିବା ପ୍ରଧାନମନ୍ତ୍ରୀ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ଓକିଲ, ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ଭାରତର ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବାରେ ତାଙ୍କର ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ" ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଚିତାବାଘ (ଇଂରାଜୀରେ The Cheetah ଓ ଜୀବ ବିଜ୍ଞାନ ନାମ Acinonyx jubatus) ଏକ ବିଲେଇ ଜାତୀୟ ମାଂସଭୋଜୀ ଜୀବ । ବର୍ତ୍ତମାନ ସମୟରେ ଏହି ଜୀବ ମୁଖ୍ୟତଃ ପୂର୍ବ ଆଫ୍ରିକା, ଦକ୍ଷିଣ ଆଫ୍ରିକା ଓ ଇରାନର କେତେକ ସ୍ଥାନରେ ଦେଖାଯାଏ । ଏକିନୋନିକ୍ସ୍ ପ୍ରଜାତିର ଚିତାବାଘର ପ୍ରଥମ ବର୍ଣ୍ଣନା ୧୭୭୫ ମସିହାରେ ଜୋହାନ୍ ଡାନିଏଲ୍ ଭୋନ୍ ସ୍କ୍ରେବର୍ (Johann Christian Daniel von Schreber)ଙ୍କ ଲେଖାରେ ମିଳେ । ଚିତାବାଘର ଶରୀର ପତଳା, ମୁଣ୍ଡ ଛୋଟ, ଶରୀର ଚିତାଦାଗରେ ପୂର୍ଣ୍ଣ, ଗୋଡ଼ଗୁଡ଼ିକ ପତଳା ଓ ଲମ୍ବା ଓ ଲାଞ୍ଜ ଲମ୍ବା । ଏହାର ନାକ ଓ ଆଖି ମଝିରେ ଲୁହ ଗଡ଼ିଲା ପରି ଏକ କଳାଚିହ୍ନ ଥାଏ । ଶରୀର ଗଠନ ଦୃଷ୍ଟିରୁ ଚିତାବାଘ ପତଳା ଓ ହାଲୁକା ଯାହା ବିଲେଇ ପ୍ରଜାତିର ଅନ୍ୟ ଜୀବ ଯଥା ମହାବଳ ବାଘ, ସିଂହ, କଲରାପତରିଆ ବାଘ ଇତ୍ୟାଦିଙ୍କ ଶରୀର ଗଠନର ସମ୍ପୂର୍ଣ୍ଣ୍ଣ ବିପରୀତ । ବରଂ କୁଗାର୍ ପ୍ରଜାତିର ଜୀବଙ୍କ ସହ ଏହାର ଅଧିକ ସାମଞ୍ଜସ୍ୟ ରହିଛି । ଭୂମିରୁ ଚିତାବାଘର କାନ୍ଧର ଉଚ୍ଚତା ପ୍ରାୟ ୭୦-୯୦ ସେଣ୍ଟିମିଟର୍ ହୋଇଥିବା ବେଳେ ଏମାନଙ୍କ ଓଜନ ପ୍ରାୟ ୨୧-୭୨ କିଲୋଗ୍ରାମ୍ ମଧ୍ୟରେ ରହିଥାଏ । ଏମାନେ କଲରାପତରିଆ ବାଘଠାରୁ ସାମାନ୍ୟ ଉଚ୍ଚ ହୋଇଥିବା ବେଳେ ସିଂହମାନଙ୍କ ତୁଳନାରେ ଖୁବ୍ ଛୋଟ । ଏମାନଙ୍କ ହଳଦିଆ ବା ଧୁସରିଆ ରଙ୍ଗର ଚମଡ଼ା ପ୍ରାୟ ୨୦୦୦ ଚିତା ଚିତା ଦାଗରେ ସଜାଇ ହୋଇଥାଏ । ଚିତାବାଘ ମୁଖ୍ୟତଃ ଏକ ଦିବାଚର ପ୍ରାଣୀ ଓ ଏମାନେ ଦିନବେଳେ ଶିକାର କରନ୍ତି । ପ୍ରାପ୍ତବୟସ୍କ ଅଣ୍ଡିରା ଚିତାବାଘ ଶିକାର ପାଇଁ କ୍ଷେତ୍ର ନିୟନ୍ତ୍ରଣ କରନ୍ତି, କିନ୍ତୁ ଏମାନଙ୍କଠାରେ ସାମାଜିକ (ମିଳିମିଶି ଦଳରେ ରହିବା) ମନୋଭାବ ମଧ୍ୟ ଦେଖାଯାଇଥାଏ । କେତେକ ସମୟରେ ଚିତାବାଘ ଭାଈମାନଙ୍କ ଗୋଷ୍ଠୀ ମିଳିମିଶି ରହିବା ଓ ଶିକାର କରିବା ଦେଖାଯାଏ । ମାଈ ଚିତାବାଘମାନଙ୍କଠାରେ ଶିକାର କ୍ଷେତ୍ର ନିୟନ୍ତ୍ରଣ ପ୍ରବୃତ୍ତି ଦେଖାଯାଏ ନାହିଁ । ମାଈମାନେ ଏକାକୀ କିମ୍ବା ନିଜ ପରିବାର ସହିତ ରହନ୍ତି । ଚିତାବାଘ ମାଂସଭୋଜୀ ପ୍ରାଣୀ ଓ ସାଧାରଣତଃ ଆଣ୍ଟିଲୋପ୍ ହରିଣ (କୁଟୁରା ଭଳି ଜୀବ) ବା ଥୋମସନ୍ ଗ୍ୟାଜେଲ୍ ହରିଣଙ୍କ ଶିକାର କରନ୍ତି । ଚିତାବାଘ ଶିକାରର ଅଜାଣତରେ ତାହାର ୧୦୦ରୁ ୩୦୦ ମିଟର୍ ଦୂରତା ପର୍ଯ୍ୟନ୍ତ ଛପି ଛପି ତା’ର ଅନୁସରଣ କରେ ଓ ତାହାପରେ ଶିକାରକୁ ଗୋଡ଼ାଇ ଧରିବାକୁ ଚେଷ୍ଟା କରେ । ଦୌଡ଼ୁଥିବା ଅବସ୍ଥାରେ ଶିକାରକୁ ପକାଇ ଦେଇ ଓ ତାହାର ଶ୍ୱାସରୁଦ୍ଧ କରି ହତ୍ୟା କରେ । ଚିତାବାଘର ଦ୍ରୁତ ବେଗର କାରଣ ହେଉଛି ତାହାର ଶରୀର ଗଠନ । ସ୍ଥଳଚର ପ୍ରାଣୀଙ୍କ ମଧ୍ୟରେ ଚିତାବାଘ ଦ୍ରୁତତମ । ଶିକାର କରୁଥିବା ଅବସ୍ଥାରେ ଚିତାବାଘର ହାରାହାରି ବେଗ ପ୍ରାୟ ୬୪ କି.ମି. ପ୍ରତି ଘଣ୍ଟା ହୋଇଥାଏ । ଶିକାରକୁ ଗୋଡ଼ାଇବା ବେଳେ ଚିତାବାଘ ଖୁବ୍ କମ୍ ସମୟପାଇଁ ପ୍ରାୟ ୧୧୨ କି.ମି.
ସାତକଡ଼ି ହୋତା (୨୯ ଅକ୍ଟୋବର ୧୯୨୯–୧୧ ଫେବୃଆରୀ ୨୦୨୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ସାହିତ୍ୟିକ ଓ ଖବରକାଗଜ ସମ୍ପାଦକ ଥିଲେ । କବିତାରି ସେ ନିଜ ସାହିତ୍ୟ ରଚନା ଆରମ୍ଭ କରି ୨୭ଟି ଗଳ୍ପ, ୨୧ଟି ଉପନ୍ୟାସ ଓ ଗୋଟିଏ କବିତା ସଂକଳନ ପୁସ୍ତକ ରଚନା କରିଥିଲେ । ଏଥି ସହିତ ସେ ଅନୁବାଦ ଓ ଆତ୍ମଜୀବନୀ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ୧୯୬୭ରେ ତାଙ୍କର ପ୍ରଥମ ଉପନ୍ୟାସ ବ୍ୟାକୁଳ ହୃଦୟ ଓ ୧୯୭୧ରେ ପ୍ରଥମ ଗପ ପ୍ରକାଶ ପାଇଥିଲା । ତାଙ୍କ ଉପନ୍ୟାସ ଅଶାନ୍ତ ଅରଣ୍ୟ ପାଇଁ ସେ ୧୯୮୭ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ସମେତ ୨୦୦୦ ମସିହାରେ ଉତ୍କଳ ସାହିତ୍ୟ ସମାଜ ଉପନ୍ୟାସ ସମ୍ମାନ, ୨୦୦୪ରେ ଶାରଳା ପୁରସ୍କାର, ୨୦୧୭ରେ ସାହିତ୍ୟ ଭାରତୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ଭାରତୀୟ ରେଳବାଇରୁ ଅବସର ପରେ ସେ ଓଡ଼ିଆ ଖବରକାଗଜ ସମୟର ସମ୍ପାଦକ ଥିଲେ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ମଧ୍ୟ ଥିଲେ । ୧୯୮୫ ମସିହାରେ ସେ ଭୁବନେଶ୍ୱର ପୁସ୍ତକ ମେଳାର ମୁଖ୍ୟ ଉଦ୍ୟୋକ୍ତା ଥିଲେ । ସେ ଓଡ଼ିଆ ଲେଖକ ଗୀତା ହୋତାଙ୍କୁ ବିବାହ କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ନାଗାର୍ଜୁନ ବେଶ (ପର୍ଶୁରାମ ବେଶ ନାମରେ ମଧ୍ୟ ଜଣା) ଜଗନ୍ନାଥ ମନ୍ଦିରରେ ଦିଅଁମାନଙ୍କୁ କରାଯାଉଥିବା ବେଶଗୁଡ଼ିକ ଭିତରୁ ଏକ ବେଶ । ଯେଉଁ ବର୍ଷ କାର୍ତ୍ତିକ ମାସରେ ପଞ୍ଚକ ଛଅ ଦିନ ପଡ଼େ ସେହି ବର୍ଷ ମଳ ତିଥିରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନଙ୍କ ନାଗାର୍ଜୁନ ବେଶ ହୁଏ । ଅତୀତରେ ଏହି ବେଶ ୧୯୯୪ ମସିହା ନଭେମ୍ବର ୧୬ ତାରିଖରେ, ଓ ତା ପୂର୍ବରୁ ୧୯୯୩ ନଭେମ୍ବର ୨୬, ୧୯୬୮ ନଭେମ୍ବର ୩, ୧୯୬୭ ନଭେମ୍ବର ୧୬ ଓ ୧୯୬୬ ନଭେମ୍ବର ୨୬ରେ ପାଳିତ ହୋଇଥିଲା ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ନିତ୍ୟାନନ୍ଦ ମହାପାତ୍ର ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଏବଂ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ଆନ୍ଦୋଳନ କରି ସେ ତିନିଥର କାରାବରଣ କରିଥିଲେ । ସେ ୧୧ ଖଣ୍ଡ ଉପନ୍ୟାସ, ୪ ଖଣ୍ଡ ଗଳ୍ପ ସଙ୍କଳନ ଓ ଏକାଧିକ କବିତା ସଙ୍କଳନ ରଚନା କରିଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।