ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଚଉଷଠି ଯୋଗିନୀ ମନ୍ଦିର ଓଡ଼ିଶାର ଭୁବନେଶ୍ୱରସ୍ଥିତ ହୀରାପୁର ଗାଆଁରେ ଥିବା ଏକ ପୁରାତନ ଯୋଗିନୀ ପୀଠ (ତନ୍ତ୍ରପୀଠ) । ସ୍ଥାନୀୟ ଅଞ୍ଚଳରେ ଏହା ମହାମାୟା ମନ୍ଦିର ନାମରେ ମଧ୍ୟ ଜଣା । ତନ୍ତ୍ର ସଂସ୍କୃତିରେ ଯୋଗିନୀମାନଙ୍କ ସମ୍ପର୍କରେ ବିଶେଷ ଭୂମିକା ଅନ୍ତର୍ନିହିତ ଅଛି । ତେଣୁ ହୀରାପୁରର ଚଉଷଠୀ ଯୋଗିନୀ ପୀଠକୁ ତନ୍ତ୍ରପୀଠ କୁହାଯାଏ । ଏହି ମନ୍ଦିର ୧୯୫୩ ମସିହାରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ମୁଖ୍ୟ ଓ ପ୍ରତ୍ନତତ୍ତ୍ୱବିଦ କେଦାରନାଥ ମହାପାତ୍ରଙ୍କଦ୍ୱାରା ଲୋକଲୋଚନକୁ ଆସିଥିଲା । ଏହି ଦେଉଳର ଉପରିଭାଗ ଖୋଲା । ମନ୍ଦିରର କେନ୍ଦ୍ରସ୍ଥଳରେ ଅଷ୍ଟକୋଣୀ ବିଶାଳ ଲିଙ୍ଗ ରହିଛି । ଦେଉଳ ମଧ୍ୟଭାଗରେ ପରବର୍ତ୍ତୀ ସମୟରେ ଏକ ଚଣ୍ଡୀମଣ୍ଡପ ସ୍ଥାପିତ । ଏଥିରେ ଚାରୋଟି ଶିବ ଓ ଯୋଗିନୀଙ୍କ ପ୍ରତିମା ସ୍ଥାପିତ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଇଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ୱାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-""ଅଇଲା ଚିତୋଉ ନାନୀ/ ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ/ ସବୁ ଓଷା ବାର ଏଇଠି ଥାଉ ।"
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଶ୍ରୀମନ୍ଦିରରେ ଥିବା ବିଭିନ୍ନ ମଣ୍ଡପସବୁ ହେଲା: ଭେଟ ମଣ୍ଡପ, ଚାହାଣୀ ମଣ୍ଡପ, ସ୍ନାନ ମଣ୍ଡପ, ପ୍ରସାଦ ମଣ୍ଡପ, ବୈକୁଣ୍ଠ ମଣ୍ଡପ, ବକୁଳ ମଣ୍ଡପ, ଭୋଗ ମଣ୍ଡପ, ମୁକ୍ତି ମଣ୍ଡପ, ମାଜଣା ମଣ୍ଡପ, ଜଳକ୍ରୀଡା ମଣ୍ଡପ, ନାଭିକଟା ମଣ୍ଡପ, ଦେବସଭା ମଣ୍ଡପ, ଅଚିନ୍ତା ମଣ୍ଡପ, ନାଟପା ମଣ୍ଡପ, ଆଡ଼ପ ମଣ୍ଡପ, ବଳି ମଣ୍ଡପ, ରତ୍ନ ମଣ୍ଡପ (ରତ୍ନ ବେଦୀ), ଦୋଳ ମଣ୍ଡପ (ଦୋଳ ବେଦୀ) ଓ ଯଜ୍ଞ ମଣ୍ଡପ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମଙ୍ଗଳ ପାଣ୍ଡେ ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ଯିଏକି ୧୮୫୭ ମସିହାରେ ଭାରତର ପ୍ରଥମ ସ୍ୱାଧିନତା ସଂଗ୍ରାମରେ ପ୍ରମୁଖ ଭୂମିକା ନିଭାଇ ଥିଲେ । ସେ ଇଷ୍ଟ ଇଣ୍ଡିଆ କମ୍ପାନିର ୩୪ତମ ବେଙ୍ଗାଲ ନେଟିଭ୍ ଇନ୍ଫେନ୍ଟ୍ରିରେ ଜଣେ ସିପାହୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କର ମହତ୍ୱପୂର୍ଣ ଭୂମିକାକୁ ନେଇକି ଭାରତ ସରକାରଙ୍କଦ୍ୱାରା ସମ୍ମାନ ସ୍ୱରୂପ ୧୯୮୪ ମସିହାରେ ଏକ ଡାକ ଟିକଟ ଜାରି କରାଯାଇଥିଲା ।
ଅବନୀ ଚତୁର୍ବେଦୀ (ଜନ୍ମ ୨୭ ଅକ୍ଟୋବର ୧୯୯୩) ମଧ୍ୟପ୍ରଦେଶର ରେବା ଜିଲ୍ଲାରେ ଜନ୍ମିତ ଜଣେ ଭାରତୀୟ ବିମାନଚାଳକ ଅଟନ୍ତି । ତାଙ୍କୁ ତାଙ୍କର ଦୁଇ ସହଯୋଗୀ ମୋହନା ସିଂ ଜିତରବାଲ ଏବଂ ଭାବନା କଣ୍ଠଙ୍କ ସହ ପ୍ରଥମ ମହିଳା ଯୁଦ୍ଧ ବିମାନଚାଳକ ଭାବରେ ଘୋଷଣା କରାଯାଇଥିଲା । ଜୁନ ୨୦୧୬ ମସିହାରେ ଏହି ତ୍ରି ଭାରତୀୟ ବାୟୁସେନା ଯୁଦ୍ଧ ବିମାନ ସେନାଦଳରେ ଅନ୍ତର୍ଭୁକ୍ତ କରାଯାଇଥିଲା । ଦେଶର ସେବା କରିବା ପାଇଁ ସେମାନଙ୍କୁ ୧୮ ଜୁନ ୨୦୧୬ ମସିହାରେ ତତ୍କାଳୀନ ପ୍ରତିରକ୍ଷା ମନ୍ତ୍ରୀ ମନୋହର ପାରିକର ଆନୁଷ୍ଠାନିକ ଭାବରେ ନିର୍ଦ୍ଦେଶ ଦେଇଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଗଣେଶ୍ୱର ମିଶ୍ର (୨୮ ଅକ୍ଟୋବର ୧୯୪୨ - ୧୦ ଅଗଷ୍ଟ ୨୦୧୫) ଜଣେ ଓଡ଼ିଆ ଲେଖକ, ଅନୁବାଦକ ଓ ଶିକ୍ଷାବିଦ ଥିଲେ । ସେ ତାଙ୍କ ଶିଶୁ ସାହିତ୍ୟ ପୁସ୍ତକ "ବିଲାତରେ ବାବୁ ଓ ପପୁ" ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ମିଶ୍ର ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ମଧ୍ୟ ଥିଲେ । ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ପ୍ରାୟ ୧୦୦ରୁ ଉର୍ଦ୍ଧ ପୁସ୍ତକ ରଚନା କରିଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟ, କେଣ୍ଟ ବିଶ୍ୱବିଦ୍ୟାଳୟ ଓ ଲଣ୍ଡନ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିଥିଲେ ।
ରୀତା ସାହୁ (ଜନ୍ମ: ୧୬ ଜୁନ ୧୯୭୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ୨୦୧୮ ମସିହାର ବିଜେପୁର ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଓଡ଼ିଶା ବିଧାନ ସଭାର ୧୫ଶ ସଭାକୁ ନିର୍ବାଚିତ ହୋଇଥିଲେ । ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ ବିଜେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀର ବିଧାୟକ ଥିବା ତାଙ୍କ ପତି ସୁବଳ ସାହୁଙ୍କର ମୃତ୍ୟୁ ପରେ ସେଠାରେ ଉପ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ଏବଂ ଏହି ନିର୍ବାଚନରେ ସେ ବିଜୁ ଜନତା ଦଳର ପାର୍ଥୀ ଭାବରେ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ । ଏହାପରେ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ବିଜେପୁରରୁ ନିର୍ବାଚିତ ବିଧାୟକ ନବୀନ ପଟ୍ଟନାୟକଙ୍କର ଇସ୍ତଫା ପରେ ହୋଇଥିବା ଉପ-ନିର୍ବାଚନରେ ରୀତାସାହୁ ପୁଣିଥରେ ବିଜେପୁର ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ଉପ-ନିର୍ବାଚନରେ ରୀତା ସାହୁ ୯୭,୯୯୦ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ, ଯାହାକି ଓଡ଼ିଶା ବିଧାନ ସଭା ନିର୍ବାଚନ ଇତିହାସରେ ସର୍ବାଧିକ ଭୋଟ ବ୍ୟବଧାନ ଥିଲା ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ସାବିତ୍ରୀ ବାଈ ଫୁଲେ (ଜନ୍ମ: ୧ ଜାନୁଆରୀ ୧୯୮୧) ଜଣେ ଭାରତୀୟ ରାଜନୀତିଜ୍ଞ । ସେ କାନ୍ସିରାମ ବହୁଜନ ସମାଜ ପାର୍ଟିର (କେବିଏସ୍ପି) ସଭାପତି । ୨୦୧୨ ମସିହାରେ ସେ ରାଜ୍ୟ ବିଧାନ ସଭାକୁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ନିର୍ବାଚିତ ହୋଇଥିଲେ । ୨୦୧୪ ଭାରତୀୟ ସାଧାରଣ ନିର୍ବାଚନରେ ସେ ବହରାଇଚ ଲୋକ ସଭା ନିର୍ବାଚନ ମଣ୍ଡଳୀ ପାଇଁ ନିର୍ବାଚନ ଲଢ଼ିଥିଲେ ଏବଂ ୧୬ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଆର୍. ମାଧବନ୍ (ଜନ୍ମ: ୧ ଜୁନ ୧୯୭୦), ଜଣେ ଭାରତୀୟ ଅଭିନେତା, ଲେଖକ ଏବଂ ଚଳଚ୍ଚିତ୍ର ପ୍ରଯୋଜକ । ସେ ତିନୋଟି ଫିଲ୍ମଫେୟାର ପୁରସ୍କାର ସହ ଗୋଟିଏ ତାମିଲନାଡ଼ୁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି । ଏହିସହିତ ତାଙ୍କୁ ଅନେକ ପୁରସ୍କାର ପାଇଁ ମଧ୍ୟ ମନୋନୀତ କରାଯାଇଥିଲା । ମାଧବନ୍ ସମୁଦାୟ ସାତୋଟି ଭାଷାର ଚଳଚ୍ଚିତ୍ରରେ କାର୍ଯ୍ୟ କରିଛନ୍ତି । ଭାରତୀୟ ଅଭିନେତାମାନଙ୍କ ମଧ୍ୟରେ ଏମିତି କାମ କରିଥିବା କଳାକାର ବିରଳ । ମାଧବନ୍ ୧୯୯୬ ମସିହାରେ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ସେ ପ୍ରଥମେ ଦୂରଦର୍ଶନରେ ଜଣେ ଅତିଥି କଳାକାର ଭାବରେ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ଜୀ ଟିଭିର ସନ୍ଧ୍ୟାବେଳିଆ ଆସୁଥିବା ନିତିଦିନିଆ ଧାରାବାହିକ ବନେଗି ଅପ୍ନି ବାତ୍ ଜରିଆରେ ସେ ପ୍ରଥମେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ କିଛି ବ୍ୟବସାୟିକ ଏବଂ ଛୋଟ ଭୂମିକାରେ ଅଭିନୟ କରିବାପରେ ତାଙ୍କୁ ତାମିଲ କଥାଚିତ୍ର ଜଗତରେ ଅଭିନୟର ସୁଯୋଗ ମିଳିଲା । ୨୦୦୦ ମସିହାରେ ମୁକ୍ତିଲାଭ କରିଥିବା ମଣି ରତ୍ନମ୍ଙ୍କ ସଫଳ ପ୍ରେମ ଭିତ୍ତିକ ଚଳଚ୍ଚିତ୍ର ଆଲାଇପାୟୁଥାଏରେ ମାଧବନ୍ଙ୍କୁ ସବୁଠାରୁ ବଡ଼ ସଫଳତା ମିଳିଥିଲା । ଏହାପରେ ସେ କିଛି ସଫଳ ତାମିଲ ଚଳଚ୍ଚିତ୍ରରେ ଅଭିନୟ କରି ଅଧିକ ସଫଳତା ସାଉଁଣ୍ଟିଥିଲେ । ୨୦୦୧ ମସିହରେ ଗୌତମ ମେନନ୍ଙ୍କର ପ୍ରଥମ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ମିନ୍ନାଲେ ଏବଂ ମାଦ୍ରାସ ଟକିଜ୍ରେ ମଧବନ୍ଙ୍କୁ ବଡ଼ ସଫଳତା ମିଳିଥିଲା । ଏହାପରେ ସେ ରୋମାଣ୍ଟିକ ନାୟକରୁ ବାହାରି ୨୦୦୨ରେ ମଣି ରତ୍ନମ୍ଙ୍କର ଅନ୍ୟ ଏକ ଚଳଚ୍ଚିତ୍ର କନ୍ନାଥିଲ୍ ମୁଥାମିତ୍ତାଲରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିରେ ସେ ଗୋଟିଏ ପୋଷ୍ୟଗ୍ରହଣ କରିଥିବା ଝିଅର ବାପା ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସମୀକ୍ଷକମାନେ ପସନ୍ଦ କରିଥିଲେ । ଏହାପରେ ୨୦୦୨ର ଅନ୍ୟ ଏକ ଚଳଚ୍ଚିତ୍ର ଏନ୍.
ଭାବନା କଣ୍ଠ ଭାରତର ପ୍ରଥମ ମହିଳା ବିମାନଚାଳକ ଅଟନ୍ତି । ତାଙ୍କୁ ତାଙ୍କର ଦୁଇ ସହଯୋଗୀ ମୋହନା ସିଂ ଜିତରବାଲ ଏବଂ ଅବନୀ ଚତୁର୍ବେଦୀଙ୍କ ସହ ପ୍ରଥମ ମହିଳା ଯୁଦ୍ଧ ବିମାନଚାଳକ ଭାବରେ ଘୋଷଣା କରାଯାଇଥିଲା । ଜୁନ ୨୦୧୬ ମସିହାରେ ଏହି ତିନିଜଣଙ୍କୁ ଭାରତୀୟ ବାୟୁସେନା ଯୁଦ୍ଧ ବିମାନ ସେନାଦଳରେ ଅନ୍ତର୍ଭୁକ୍ତ କରାଯାଇଥିଲା । ସେମାନଙ୍କୁ ପ୍ରତିରକ୍ଷା ମନ୍ତ୍ରୀ ମନୋହର ପାରିକର ଆନୁଷ୍ଠାନିକ ଭାବେ ଦାୟିତ୍ୱ ଦେଇଥିଲେ ।
ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
୧୯୨୨ ଖ୍ରୀଷ୍ଟାବ୍ଦରେ ସିନ୍ଧୁନଦୀର ଉପତ୍ୟକାରେ ପଶ୍ଚିମ ପଞ୍ଚାବସ୍ଥିତ ମୋଣ୍ଟେଗୋମେରୀ ଜିଲ୍ଲାର ହରପ୍ପାଠାରେ ଗୋଟିଏ ପ୍ରାଚୀନ ନଗରୀର ଧ୍ୱସାବଶେଷ ଆବିଷ୍କାର ଫଳରେ ଭାରତ ଇତିହାସରେ ଏକ ଗୁରୁତ୍ୱପୂଣ୍ଣର୍ ଅଧ୍ୟାଯ ଉନ୍ମୋଚିତ ହୋଇପାରିଛି। ଏହି ନଗରୀଟି ଥିଲା ଏକ ମହନୀୟ ସଭ୍ୟତାର ପୀଠସ୍ଥଳୀ। ଠିକ୍ ସେହିପରି ଏଚ ସଂସ୍କୃତି ମହେଞ୍ଜୋଦାରୋଠାରେ ଆବିଷ୍କୃତ ହୋଇଥିଲା। ଏହି ହରପ୍ପା ସଂସ୍କୃତି ସିନ୍ଧୁ ଓ ସରସ୍ୱତୀ ନଦୀ ଦ୍ୱୟ ମଧ୍ୟରେ ହୋଇଥିଲା।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଶିଶୁ କନ୍ୟାକୁ ବଞ୍ଚାଅ, ଝିଅକୁ ପଢ଼ାଅ (Beti Bachao, Beti Padhao)(BBBP) ଭାରତ ସରକାରଙ୍କ ଏକ ଯୋଜନା ଯାହାର ଲକ୍ଷ୍ୟ ହେଉଛି ଶିଶୁ କନ୍ୟାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି, ମହିଳାଙ୍କ କାର୍ଯ୍ୟଦକ୍ଷତା ଏବଂ ସାମଗ୍ରିକ ଅଭିବୃଦ୍ଧି । ନରେନ୍ଦ୍ର ମୋଦୀ ୨୨ ଜାନୁଆରୀ ୨୦୧୫ରେ ହରିଆଣାର ପାନିପଥଠାରେ ଏହି ଯୋଜନାର ଉଦ୍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମର ପ୍ରାରମ୍ଭିକ କର୍ପସ ପାଣ୍ଠି ହେଉଛି ୧୦୦ କୋଟି ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଜିମ୍ କର୍ବେଟ୍ ଜାତୀୟ ଉଦ୍ୟାନ ଭାରତର ସବୁଠାରୁ ପୁରୁଣା ଜାତୀୟ ଉଦ୍ୟାନ । କ୍ରମଶଃ ହ୍ରାସ ପାଇଆସୁଥିବା ମହାବଳ ବାଘଙ୍କ ସଂଖ୍ୟାକୁ ଦେଖି ଈଂରେଜ ଶାସନାଧୀନ ଭାରତରେ ୧୯୩୬ ମସିହାରେ ହେଲି ଜାତୀୟ ଉଦ୍ୟାନ ସ୍ଥାପିତ ହୋଇଥିଲା । ଉତ୍ତରାଖଣ୍ଡ (ତତ୍କାଳୀନ ଉତ୍ତର ପ୍ରଦେଶ) ରାଜ୍ୟର ନୈନିତାଲ ଜିଲ୍ଲାରେ ଏହି ଜାତୀୟ ଉଦ୍ୟାନ ସ୍ଥାପିତ ହୋଇଥିଲା । ଏହାର ସ୍ଥାପନରେ ଜିମ୍ କର୍ବେଟ୍ ଏକ ସକ୍ରିୟ ଭୂମିକା ଗ୍ରହଣ କରିଥିବାରୁ ଏହି ଜାତୀୟ ଉଦ୍ୟାନ ପରେ ତାଙ୍କରି ନାମରେ ନାମିତ ହୋଇଥିଲା । ଏହି ଜାତୀୟ ଉଦ୍ୟାନ ବ୍ୟାଘ୍ର ପ୍ରକଳ୍ପଦ୍ୱାରା ଚୟନ କରାଯାଇଥିବା ପ୍ରଥମ ବ୍ୟାଘ୍ର ଅଭୟାରଣ୍ୟ ଥିଲା । ଏହି ଜଙ୍ଗଲରେ ତେରାଇ ବା ହିମାଳୟ ପାଦଦେଶବର୍ତ୍ତୀ ଅଞ୍ଚଳର ଭୌଗୋଳିକ ପରିବେଶ ଓ ଜଳବାୟୁ ଅନୁଭୂତ ହୁଏ । ଏକ ଇକୋଟୁରିଜମ୍ କ୍ଷେତ୍ର ରୂପେ ପରିଚିତ ଏହି ଜାତୀୟ ଉଦ୍ୟାନରେ ୪୮୮ ଭିନ୍ନ ପ୍ରଜାତିର ଉଦ୍ଭିଦ ଓ ଅନେକ ପ୍ରକାରର ଜୀବଜନ୍ତୁ ପରିଲକ୍ଷିତ ହୁଅନ୍ତି । ମାତ୍ରାଧିକ ପର୍ଯ୍ୟଟକଙ୍କ ଆଗମନ ବର୍ତ୍ତମାନ ଏହି ଜାତୀୟ ଉଦ୍ୟାନର ପାରିବେଶିକ ସନ୍ତୁଳନ ପ୍ରତି ବିପଦ ସୃଷ୍ଟି କରିଛି । କର୍ବେଟ୍ ସବୁବେଳେ ପର୍ଯ୍ୟଟକ ଓ ଜୀବପ୍ରେମୀଙ୍କ ପାଇଁ ଏକ ପ୍ରିୟ ସ୍ଥାନ ରହିଆସିଛି । ଜାତୀୟ ଉଦ୍ୟାନର ସୁନ୍ଦର ଜଙ୍ଗଲ ଓ ଜୀବଜନ୍ତୁଙ୍କ ଦର୍ଶନ କରିବା ପାଇଁ କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳ ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି । ସାମ୍ପ୍ରତିକ ସମୟରେ ଜାକୀୟ ଉଦ୍ୟାନକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟା ବହୁ ଗୁଣ ବୃଦ୍ଧି ପାଇଛି । ପର୍ଯ୍ୟଟନ ଋତୁରେ ଦୈନିକ ହାରାହାରି ୭୦ ହଜାର ପର୍ଯ୍ୟଟକ ଉଦ୍ୟାନ ଦେଖିବାକୁ ଆସନ୍ତି । ୫୨୦.୮ ବର୍ଗ କି.ମି.
କୁମାର ସାନୁ(୨୦ ଅକ୍ଟୋବର ୧୯୫୭)ଙ୍କ ପ୍ରକୃତ ନାମ ହେଉଛି କେଦାରନାଥ ଭଟ୍ଟାଚାର୍ଯ୍ୟ ଜଣେ ଭାରତୀୟ କଣ୍ଠଶିଳ୍ପୀ । ସେ ବଲିଉଡରେ ବେଶ ପରିଚିତ ଓ ପ୍ରସିଦ୍ଧ । ୧୯୯୩ରେ ଏକ ଦିନରେ ୨୮ଟି ଗୀତ ରେକଡିଙ୍ଗ କରି ସେ ଗିନିଜ ବୁକରେ ସ୍ଥାନ ପାଇଥିଲେ । କ୍ରମାଗତ ୫ଥର ସେ ଫିଲ୍ମ ଫେୟାର ଆୱାର୍ଡ(ସବୁଠାରୁ ଭଲ ପୁରୁଷ ଗାୟକ) ପାଇ ରେକର୍ଡ କରିଥିଲେ । ୨୦୦୯ରେ ପଦ୍ମଶ୍ରୀ ଉପାଧି ପାଇଥିଲେ ।
ନାଥୂ ଲା (ଦେବନାଗରୀ ; རྣ་ཐོས་ལ་, IAST: Nāthū Lā, Chinese: 乃堆拉山口; pinyin: Nǎiduīlā Shānkǒu) ହିମାଳୟର ଏକ ପାହାଡ଼ ଘାଟୀ ଅଟେ ଯାହା ଭାରତର ସିକ୍କୀମ ରାଜ୍ୟ ଓ ଦକ୍ଷିଣ ତିବତ୍ତରେ "ଚୁମ୍ବୀ ଘାଟି"କୁ ଯୋଡ଼ିହୋଇ ରହିଛି । ଏହା ୧୪ ହଜାର ୨୦୦ ଫୁଟ ଉଚ୍ଚରେ ରହିଛି । ଭାରତ ଏବଂ ଚୀନ ମଧ୍ୟରେ ୧୯୬୨ ମସିହାର ଯୁଦ୍ଧ ପରେ ଏହାକୁ ବନ୍ଦ କରିଦିଆ ଯାଇଥିଲା । ଏହାକୁ ପୁନଶ୍ଚ ଜୁଲାଇ ୫, ୨୦୦୬ ମସିହାରେ ବ୍ୟବସାୟ ବ୍ୟାପାର ପାଇଁ ଖୋଲିଦିଆ ଯାଇଥିଲା । ୨୦ବିଂ ଶତାବ୍ଦୀ ଆରମ୍ଭରେ ଭାରତ ଓ ଚୀନରେ ହେଉଥିବା ବ୍ୟାପାରର ୮୦ ପ୍ରତିଶତ ଅଂଶ ନାଥୂ ଲାଦ୍ୱାରା ହିଁ ହେଉଥିଲା । ଏହା ପ୍ରାଚୀନ ରେଶମ ମାର୍ଗର ଏକ ଶାଖାର ମଧ୍ୟ ଭାଗରେ ରହିଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।