ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଇଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ୱାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-""ଅଇଲା ଚିତୋଉ ନାନୀ/ ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ/ ସବୁ ଓଷା ବାର ଏଇଠି ଥାଉ ।"
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଭାରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ଼ ରାଜନୈତିକ ଦଳ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
୧୯୨୨ ଖ୍ରୀଷ୍ଟାବ୍ଦରେ ସିନ୍ଧୁନଦୀର ଉପତ୍ୟକାରେ ପଶ୍ଚିମ ପଞ୍ଚାବସ୍ଥିତ ମୋଣ୍ଟେଗୋମେରୀ ଜିଲ୍ଲାର ହରପ୍ପାଠାରେ ଗୋଟିଏ ପ୍ରାଚୀନ ନଗରୀର ଧ୍ୱସାବଶେଷ ଆବିଷ୍କାର ଫଳରେ ଭାରତ ଇତିହାସରେ ଏକ ଗୁରୁତ୍ୱପୂଣ୍ଣର୍ ଅଧ୍ୟାଯ ଉନ୍ମୋଚିତ ହୋଇପାରିଛି। ଏହି ନଗରୀଟି ଥିଲା ଏକ ମହନୀୟ ସଭ୍ୟତାର ପୀଠସ୍ଥଳୀ। ଠିକ୍ ସେହିପରି ଏଚ ସଂସ୍କୃତି ମହେଞ୍ଜୋଦାରୋଠାରେ ଆବିଷ୍କୃତ ହୋଇଥିଲା। ଏହି ହରପ୍ପା ସଂସ୍କୃତି ସିନ୍ଧୁ ଓ ସରସ୍ୱତୀ ନଦୀ ଦ୍ୱୟ ମଧ୍ୟରେ ହୋଇଥିଲା।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଶିଶୁ କନ୍ୟାକୁ ବଞ୍ଚାଅ, ଝିଅକୁ ପଢ଼ାଅ (Beti Bachao, Beti Padhao)(BBBP) ଭାରତ ସରକାରଙ୍କ ଏକ ଯୋଜନା ଯାହାର ଲକ୍ଷ୍ୟ ହେଉଛି ଶିଶୁ କନ୍ୟାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି, ମହିଳାଙ୍କ କାର୍ଯ୍ୟଦକ୍ଷତା ଏବଂ ସାମଗ୍ରିକ ଅଭିବୃଦ୍ଧି । ନରେନ୍ଦ୍ର ମୋଦୀ ୨୨ ଜାନୁଆରୀ ୨୦୧୫ରେ ହରିଆଣାର ପାନିପଥଠାରେ ଏହି ଯୋଜନାର ଉଦ୍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମର ପ୍ରାରମ୍ଭିକ କର୍ପସ ପାଣ୍ଠି ହେଉଛି ୧୦୦ କୋଟି ।
ଅଶ୍ୱିନୀ ବୈଷ୍ଣବ (ଜନ୍ମ: ୧୯୭୦; ଜନ୍ମସ୍ଥାନ: ଯୋଧପୁର, ରାଜସ୍ଥାନ) ଜଣେ ଭାରତୀୟ ରାଜନେତା ତଥା ପୂର୍ବତନ ପ୍ରଶାସନିକ ଅଧିକାରୀ । ସେ ଓଡ଼ିଶା କ୍ୟାଡରରେ ଭାରତୀୟ ପ୍ରଶାସନିକ ସେବାରେ ୧୬ ବର୍ଷ କାର୍ଯ୍ୟ କରି ୨୦୧୦ ମସିହାରେ ସ୍ୱେଚ୍ଛାକୃତ ଭାବରେ ଇସ୍ତଫା ଦେଇଥିଲେ । ସେ ବର୍ତ୍ତମାନ ଭାରତ ସରକାରଙ୍କ ରେଳ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଭାରତୀୟ ଜନତା ପାର୍ଟିର ଜଣେ ସଦସ୍ୟ । ୨୮ ଜୁନ ୨୦୧୯ରୁ ସେ ଓଡ଼ିଶାରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ । ଜୁଲାଇ ୨୦୨୧ର ସେ କେନ୍ଦ୍ରମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଥିଲେ ଏବଂ ରେଳ ମନ୍ତ୍ରଣାଳୟ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଭାବରେ କାର୍ଯ୍ୟାରମ୍ଭ କରିଥିଲେ । ତାଙ୍କ ପରିବାର ରାଜସ୍ଥାନର ପାଲି ଜିଲ୍ଲାସ୍ଥିତ ରାଣୀ ଗ୍ରାମର ମୂଳ ବାସିନ୍ଦା ଏବଂ ପରବର୍ତ୍ତୀ ସମୟରେ ସେମାନେ ଯୋଧପୁରକୁ ସ୍ଥାନାନ୍ତରିତ ହୋଇଯାଇଥିଲେ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଚଉଷଠି ଯୋଗିନୀ ମନ୍ଦିର ଓଡ଼ିଶାର ଭୁବନେଶ୍ୱରସ୍ଥିତ ହୀରାପୁର ଗାଆଁରେ ଥିବା ଏକ ପୁରାତନ ଯୋଗିନୀ ପୀଠ (ତନ୍ତ୍ରପୀଠ) । ସ୍ଥାନୀୟ ଅଞ୍ଚଳରେ ଏହା ମହାମାୟା ମନ୍ଦିର ନାମରେ ମଧ୍ୟ ଜଣା । ତନ୍ତ୍ର ସଂସ୍କୃତିରେ ଯୋଗିନୀମାନଙ୍କ ସମ୍ପର୍କରେ ବିଶେଷ ଭୂମିକା ଅନ୍ତର୍ନିହିତ ଅଛି । ତେଣୁ ହୀରାପୁରର ଚଉଷଠୀ ଯୋଗିନୀ ପୀଠକୁ ତନ୍ତ୍ରପୀଠ କୁହାଯାଏ । ଏହି ମନ୍ଦିର ୧୯୫୩ ମସିହାରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ମୁଖ୍ୟ ଓ ପ୍ରତ୍ନତତ୍ତ୍ୱବିଦ କେଦାରନାଥ ମହାପାତ୍ରଙ୍କଦ୍ୱାରା ଲୋକଲୋଚନକୁ ଆସିଥିଲା । ଏହି ଦେଉଳର ଉପରିଭାଗ ଖୋଲା । ମନ୍ଦିରର କେନ୍ଦ୍ରସ୍ଥଳରେ ଅଷ୍ଟକୋଣୀ ବିଶାଳ ଲିଙ୍ଗ ରହିଛି । ଦେଉଳ ମଧ୍ୟଭାଗରେ ପରବର୍ତ୍ତୀ ସମୟରେ ଏକ ଚଣ୍ଡୀମଣ୍ଡପ ସ୍ଥାପିତ । ଏଥିରେ ଚାରୋଟି ଶିବ ଓ ଯୋଗିନୀଙ୍କ ପ୍ରତିମା ସ୍ଥାପିତ ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ଶ୍ରୀମନ୍ଦିରରେ ଥିବା ବିଭିନ୍ନ ମଣ୍ଡପସବୁ ହେଲା: ଭେଟ ମଣ୍ଡପ, ଚାହାଣୀ ମଣ୍ଡପ, ସ୍ନାନ ମଣ୍ଡପ, ପ୍ରସାଦ ମଣ୍ଡପ, ବୈକୁଣ୍ଠ ମଣ୍ଡପ, ବକୁଳ ମଣ୍ଡପ, ଭୋଗ ମଣ୍ଡପ, ମୁକ୍ତି ମଣ୍ଡପ, ମାଜଣା ମଣ୍ଡପ, ଜଳକ୍ରୀଡା ମଣ୍ଡପ, ନାଭିକଟା ମଣ୍ଡପ, ଦେବସଭା ମଣ୍ଡପ, ଅଚିନ୍ତା ମଣ୍ଡପ, ନାଟପା ମଣ୍ଡପ, ଆଡ଼ପ ମଣ୍ଡପ, ବଳି ମଣ୍ଡପ, ରତ୍ନ ମଣ୍ଡପ (ରତ୍ନ ବେଦୀ), ଦୋଳ ମଣ୍ଡପ (ଦୋଳ ବେଦୀ) ଓ ଯଜ୍ଞ ମଣ୍ଡପ ।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ୱାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ୱାରା ତାର ସାମର୍ଥ୍ୟ ପାଇଛି ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଦୟାନନ୍ଦ ସରସ୍ୱତୀ (ଖ୍ରୀ.ଅ ୧୮୨୪ - ୧୮୮୩) ଥିଲେ ଜଣେ ଲେଖକ, ସମାଜ ସଂସ୍କାରକ ଓ ଆର୍ଯ୍ୟ ସମାଜର ସଂସ୍ଥାପକ । ଦୟାନନ୍ଦ ସଂସ୍କୃତ ଓ ହିନ୍ଦୀ ଭାଷାରେ ପ୍ରଭାବଶାଳୀ ବକ୍ତା ଭାବେ ପରିଚିତ । ସେ କହୁଥିଲେ ମୃତ ବ୍ୟକ୍ତିକୁ ଶ୍ରାଦ୍ଧ ତର୍ପଣ ନଦେଇ ଜୀବିତ ପିତାମାତା ଓ ବୃଦ୍ଧ ବ୍ୟକ୍ତିକୁ ସେବା କରିବା ହେଲା ପିତୃଯଜ୍ଞ । ଫଳିତ ଜ୍ୟୋତିଷ, ସାମୁଦ୍ରିକ ବିଦ୍ୟା, ହସ୍ତରେଖା ଆଦି ଅଯଥାର୍ଥ ଓ ଅନାବଶ୍ୟକ କାମ । ଲୈାକିକ ବ୍ୟବହାରରେ ସାଧୁତା, ଯଥାର୍ଥ କର୍ମସାଧନା, କର୍ତ୍ତବ୍ୟ ପ୍ରତି ନିଷ୍ଠା ବଳରେ ପ୍ରାଣୀ ଫଳପ୍ରାପ୍ତ ହୁଅନ୍ତି ପ୍ରତିମା ପୂଜାଦେଇ ନୁହେଁ । ତାଙ୍କର ଉପଲବ୍ଧ ସତ୍ୟକୁ ପ୍ରତିପାଦିତ କରିବାକୁ ଯାଇ ସେ ଅପୌତ୍ତଳିକତା ଓ ନିଚ୍ଛକ ବୈଦିକ ସତ୍ୟର ଆଲୋଚନା ପାଇଁ ଆର୍ଯ୍ୟ ସମାଜ ସ୍ଥାପନ କରିଥିଲେ । ଆର୍ଯ୍ୟ ସମାଜ ଜରିଆରେ ଶିକ୍ଷାର ପ୍ରସାର କରାଇ ନାରୀକୁ ପୁରୁଷ ସହ ସମାନ ଅଧିକାର ଦେବାର ଯୁକ୍ତି ସେ ଦର୍ଶାଇଥିଲେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜ୍ୟୋତିଷଶାସ୍ତ୍ର ଏକ ଛଦ୍ମ ବିଜ୍ଞାନ ଅଟେ, ଯାହା ଖଗୋଳିୟ ପିଣ୍ଡର ଚଳଣୀ ଏବଂ ସାପେକ୍ଷ ସ୍ଥିତିର ଅଧ୍ୟୟନ କରି ମନୁଷ୍ୟ ସମ୍ବନ୍ଧୀୟ ବିଷୟ ଏବଂ ସାଂସାରିକ ଘଟଣା ସମ୍ବନ୍ଧରେ ଦିବ୍ୟ କଥାବସ୍ତୁର ଦାବି କରିଥାଏ । ଏହି ଶାସ୍ତ୍ରଦ୍ୱାରା ମନୁଷ୍ୟ ତଥା ପୃଥିବୀର ଗ୍ରହ ଏବଂ ତାରାମାନଙ୍କର ଶୁଭ ତଥା ଅଶୁଭ ପ୍ରଭାବର ଅଧ୍ୟୟନ କରାଯାଇ ପାରେ । ଜ୍ୟୋତିଷ ଶବ୍ଦର ଅର୍ଥ ଗ୍ରହ ତଥା ନକ୍ଷତ୍ରଦ୍ୱାରା ସମ୍ବନ୍ଧିତ ରଖୁଥିବା ବିଦ୍ୟା । ଯଦିଓ ଏହି ଶବ୍ଦରୁ ଗଣିତ (ସିଦ୍ଧାନ୍ତ) ଜ୍ୟୋତିଷର ମଧ୍ୟ ବୋଧ ହୋଇଥାଏ, ତଥାପି ସାଧାରଣ ଲୋକ ଜ୍ୟୋତିଷ ବିଦ୍ୟାଦ୍ୱାରା ଫଳିତ ବିଦ୍ୟାର ଅର୍ଥ ବୋଲି ଭାବି ନିଅନ୍ତି।
ଅବନୀ ଚତୁର୍ବେଦୀ (ଜନ୍ମ ୨୭ ଅକ୍ଟୋବର ୧୯୯୩) ମଧ୍ୟପ୍ରଦେଶର ରେବା ଜିଲ୍ଲାରେ ଜନ୍ମିତ ଜଣେ ଭାରତୀୟ ବିମାନଚାଳକ ଅଟନ୍ତି । ତାଙ୍କୁ ତାଙ୍କର ଦୁଇ ସହଯୋଗୀ ମୋହନା ସିଂ ଜିତରବାଲ ଏବଂ ଭାବନା କଣ୍ଠଙ୍କ ସହ ପ୍ରଥମ ମହିଳା ଯୁଦ୍ଧ ବିମାନଚାଳକ ଭାବରେ ଘୋଷଣା କରାଯାଇଥିଲା । ଜୁନ ୨୦୧୬ ମସିହାରେ ଏହି ତ୍ରି ଭାରତୀୟ ବାୟୁସେନା ଯୁଦ୍ଧ ବିମାନ ସେନାଦଳରେ ଅନ୍ତର୍ଭୁକ୍ତ କରାଯାଇଥିଲା । ଦେଶର ସେବା କରିବା ପାଇଁ ସେମାନଙ୍କୁ ୧୮ ଜୁନ ୨୦୧୬ ମସିହାରେ ତତ୍କାଳୀନ ପ୍ରତିରକ୍ଷା ମନ୍ତ୍ରୀ ମନୋହର ପାରିକର ଆନୁଷ୍ଠାନିକ ଭାବରେ ନିର୍ଦ୍ଦେଶ ଦେଇଥିଲେ ।
ଜିନା ସାମଲ ଜଣେ ଓଡ଼ିଆ ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ଅଭିନୟ କରନ୍ତି । ଜୀନା ଓଡ଼ିଆ କଥାଚିତ୍ର ଫେରିଆ ମୋ ସୁନା ଭଉଣୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରତି ଧାରାବାହିକ ତୁଳସୀ, ଅପା ଏବଂ ତରଙ୍ଗ ଟିଭିରେ ପ୍ରସାରିତ କେମିତି ଏ ବନ୍ଧନରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଧାରାବାହିକ ସହ ଜିନା ଓଡ଼ିଆ ଆଧୁନିକ ଆଲବମ୍ ଏବଂ କିଛି କାର୍ଯ୍ୟକ୍ରମରେ ବିଚାରକ ଭାବରେ କାର୍ଯ୍ୟ କରିଥିଲେ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଚିନି, ୨୦୧୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ନବଜୀବନ ଫିଲ୍ମସ୍ ବ୍ୟାନରରେ ନିର୍ମିତ ହୋଇଥିଲା ଏହି ଚଳଚ୍ଚିତ୍ରଟି । ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ନିର୍ଦ୍ଦେଶକ ପ୍ରଦୀପ ଭୋଳ । ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ କୁମୁକ ପ୍ରକାଶ ପଣ୍ଡା ଏବଂ ସହ-ପ୍ରଯୋଜନା କରିଥିଲେ ଭବାନି ମାଝୀ ଓ ସ୍ନେହଲତା ପରିଡ଼ା । ଶଙ୍କର ପ୍ରଧାନ ଏବଂ ହେମନ୍ତ ପାଣ୍ଡେ ଏହି କଥାଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ପଦ୍ମଶ୍ରୀ ହଳଧର ନାଗ ଏହି ଚଳଚ୍ଚିତ୍ରରେ ଗୀତ ରଚନା କରିଥିଲେ ।