ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-""ଅଇଲା ଚିତୋଉ ନାନୀ/ ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ/ ସବୁ ଓଷା ବାର ଏଇଠି ଥାଉ ।"
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପ୍ୟାରୀମୋହନ ଆଚାର୍ଯ୍ୟ (୫ ଅଗଷ୍ଟ ୧୮୫୧ - ୨୮ ଡିସେମ୍ବର ୧୮୮୧) ଜଣେ ଭାରତୀୟ ଐତିହାସିକ ଓ ସମ୍ପାଦକ ଥିଲେ । ପ୍ୟାରୀମୋହନ ୨୦ ବର୍ଷ ବୟସରୁ ମଧୁସୂଦନ ରାଓ ଓ ଗୋବିନ୍ଦ ରଥଙ୍କ ସହିତ ମିଶି ଓଡ଼ିଆରେ ଉତ୍କଳ ପୁତ୍ର ନାମକ ସମ୍ବାଦପତ୍ର ଆରମ୍ଭ କରି ସେ ତାହାର ପ୍ରକାଶକ ଓ ସମ୍ପାଦକ ମଧ୍ୟ ଥିଲେ । ସେ ନିଜ ଉଦ୍ୟମରେ କଟକରେ ଏକ ବେସରକାରୀ ସ୍କୁଲର ପ୍ରତିଷ୍ଠା କଲେ ଯାହା ପରବର୍ତ୍ତୀ ସମୟରେ ପ୍ୟାରୀମୋହନ ଏକାଡେମୀରେ ପରିଣତ ହୋଇଥିଲା । ଉତ୍କଳରେ ଇତିହାସ ଲିଖନର ଅଭାବ ଦେଖି ସେ ପୁରାତନ ରାଜକୀୟ ନଥି ଓ ମାଦଳା ପାଞ୍ଜି ଆଦି ଉପରେ ଗବେଷଣା କରି ଗୋଟିଏ ଓଡ଼ିଆ ଇତିହାସ ସଂକଳନ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ରବି ମିଶ୍ର (ମୃତ୍ୟୁ: ୨୦ ଜାନୁଆରୀ ୨୦୨୧) ଜଣେ ଓଡ଼ିଆ ହାସ୍ୟ ଅଭିନେତା ଥିଲେ, ଯିଏକି ଓଡ଼ିଆ କଥାଚିତ୍ର, ଦୂରଦର୍ଶନ ଧାରାବାହିକ, ସିଡି ଫିଲ୍ମ ଏବଂ ମଞ୍ଚ ନାଟକରେ ଅଭିନୟ କରୁଥିଲେ । ଡିଡି ଓଡ଼ିଆରେ ପ୍ରସାରତି କାର୍ଯ୍ୟକ୍ରମ ଗୋପାଳର ରହସ୍ୟରେ ସେ ଗୋପାଳ ଭାଣ୍ଡ ଭୂମିକାରେ ଅଭିନୟ କରିଥିଲେ, ଯାହାକୁ ତାଙ୍କୁ ଘରେ ଘରେ ପରଚିତ କରାଇଥିଲା । ୧୯୭୯ ମସିହାରେ ସେ ଓଡ଼ିଆ କଥାଚିତ୍ର ଜଗତରେ କାମ କରିବା ଆରମ୍ଭ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ ଓଡ଼ିଆ କଥାଚିତ୍ର ଥିଲା ରାମାୟଣ । ଭାଇ ହେଲା ଭଗାରି, ସକଳ ତୀର୍ଥ ତୋ ଚରଣେ, ସୌଭାଗ୍ୟବତୀ, ଧଉଳି ଏକ୍ସପ୍ରେସ୍ ଭଳି ଅନେକ ସଫଳ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଧାତୁ ଭଳି କୌଣସି ଏକ ପଦାର୍ଥ ଉପରେ ପ୍ରଜ୍ଜ୍ୱଳିତ ତୀବ୍ର ଆଲୋକରଶ୍ମୀ ପକାଇଲେ, ସେଥିରୁ ଇଲେକ୍ଟ୍ରନ୍ ବିକିରଣ/ନିର୍ଗତ ହୁଏ । ଏହାକୁ ଆଲୋକ-ବୈଦ୍ୟୁତିକ ପ୍ରଭାବ (ଈଂରାଜୀରେ Photoelectric Effect) କୁହାଯାଏ । ଏହି ପ୍ରକ୍ରିୟାରେ ନିର୍ଗତ ଇଲେକ୍ଟ୍ରନ୍ମାନଙ୍କୁ “ଫୋଟୋ-ଇଲେକ୍ଟ୍ରନ୍” କୁହାଯାଏ । ଏହି ପ୍ରଭାବ ବିଦ୍ୟୁତ୍ ସମ୍ବନ୍ଧୀୟ ରସାୟନ ବିଜ୍ଞାନ ଓ ଭୌତିକ ବିଜ୍ଞାନରେ ଖୁବ୍ ଜଣାଶୁଣା ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ବ୍ରାହ୍ମ ସମାଜ ରାଜା ରାମମୋହନ ରାୟଙ୍କଦ୍ୱାରା ୧୮୨୮ ମସିହା ଅଗଷ୍ଟ ୨୦ ତାରିଖରେ ପ୍ରତିଷ୍ଠିତ ଏକ ଧାର୍ମିକ ଅନୁଷ୍ଠାନ। ବ୍ରହ୍ମ ସମାଜ ଥିଲା ରାଜା ରାମମୋହନ ରାୟଙ୍କର ଏକ ଅନବଦ୍ୟ ସୃଷ୍ଟି। ଏହି ଅନୁଷ୍ଠାନ ମାଧ୍ୟମରେ ହିଁ ସେ ଜନସାଧାରଣମାନଙ୍କୁ ତାଙ୍କ ବାଣୀ ପ୍ରଚାର କରିଥିଲେ। ଆଧ୍ୟତ୍ମିକତା, ସହିଷ୍ଣୁତା ଓ ସର୍ବ ଧର୍ମସମନ୍ୱୟ ଥିଲା ବ୍ରାହ୍ମ ସମାଜର ଆଦର୍ଶ। ରାମସେ ମେକଡୋନାଲଡଙ୍କ ଭାଷାରେ ବ୍ରାହ୍ମ ସମାଜ ହିନ୍ଦୁ ଧର୍ମକୁ ପରିତ୍ୟାଗ ନକରି ପାଶ୍ଚାତ୍ୟ ଜଗତର ଧର୍ମ ବିଶ୍ୱାସ ପ୍ରତି ଉଦାର ଓ ସହାନୁଭୂତି ସମ୍ପନ୍ନ ହେବାକୁ ଚେଷ୍ଟା କରୁଥିଲା। ଏହି ସମାଜଦ୍ୱାରା ରାମମୋହନ ହିନ୍ଦୁ ଧର୍ମର ରକ୍ଷଣଶୀଳତାକୁ ଦୂର କରିବା ନିମନ୍ତେ ଚେଷ୍ଟା କରି କେତେକାଂଶରେ କୃତକାର୍ଯ୍ୟ ହୋଇଥିଲେ। ବାସ୍ତବପକ୍ଷେ ଭାରତୀୟମାନଙ୍କ ମନରେ ସ୍ୱାଧୀନ ଚିନ୍ତାଧାରା ଓ ଦୁଃସାହାସିକ ମନୋଭାବର ବୀଜ ବପନ କରିବାରେ ସାହାଯ୍ୟ କରିଥିଲା ବ୍ରହ୍ମ ସମାଜ। ପରେ ପରେ ଏହି ବୀଜ ଏକ ବିରାଟ ବୃକ୍ଷରେ ପରିଣତ ହୋଇ ସ୍ୱାଧୀନତା ଲାଭ ନିମନ୍ତେ ସଂଗ୍ରାମ କରିବାକୁ ଭାରତୀୟମାନଙ୍କୁ ପ୍ରୋତ୍ସାହିତ କରିଥିଲା। ଏହା ଏକ ପ୍ରଭାବଶାଳୀ ଧାର୍ମିକ ଆନ୍ଦୋଳନ ମଧ୍ୟରୁ ଅନ୍ୟତମ ଥିଲା, ଯାହା ଆଧୁନିକ ଭାରତ ନିର୍ମାଣର ବିଶ୍ୱାସଯୋଗ୍ୟ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଚଉଷଠି ଯୋଗିନୀ ମନ୍ଦିର ଓଡ଼ିଶାର ଭୁବନେଶ୍ୱରସ୍ଥିତ ହୀରାପୁର ଗାଆଁରେ ଥିବା ଏକ ପୁରାତନ ଯୋଗିନୀ ପୀଠ (ତନ୍ତ୍ରପୀଠ) । ସ୍ଥାନୀୟ ଅଞ୍ଚଳରେ ଏହା ମହାମାୟା ମନ୍ଦିର ନାମରେ ମଧ୍ୟ ଜଣା । ତନ୍ତ୍ର ସଂସ୍କୃତିରେ ଯୋଗିନୀମାନଙ୍କ ସମ୍ପର୍କରେ ବିଶେଷ ଭୂମିକା ଅନ୍ତର୍ନିହିତ ଅଛି । ତେଣୁ ହୀରାପୁରର ଚଉଷଠୀ ଯୋଗିନୀ ପୀଠକୁ ତନ୍ତ୍ରପୀଠ କୁହାଯାଏ । ଏହି ମନ୍ଦିର ୧୯୫୩ ମସିହାରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ମୁଖ୍ୟ ଓ ପ୍ରତ୍ନତତ୍ତ୍ୱବିଦ କେଦାରନାଥ ମହାପାତ୍ରଙ୍କଦ୍ୱାରା ଲୋକଲୋଚନକୁ ଆସିଥିଲା । ଏହି ଦେଉଳର ଉପରିଭାଗ ଖୋଲା । ମନ୍ଦିରର କେନ୍ଦ୍ରସ୍ଥଳରେ ଅଷ୍ଟକୋଣୀ ବିଶାଳ ଲିଙ୍ଗ ରହିଛି । ଦେଉଳ ମଧ୍ୟଭାଗରେ ପରବର୍ତ୍ତୀ ସମୟରେ ଏକ ଚଣ୍ଡୀମଣ୍ଡପ ସ୍ଥାପିତ । ଏଥିରେ ଚାରୋଟି ଶିବ ଓ ଯୋଗିନୀଙ୍କ ପ୍ରତିମା ସ୍ଥାପିତ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ଲାଲ ବାହାଦୂର ଶାସ୍ତ୍ରୀ (୨ ଅକ୍ଟୋବର ୧୯୦୪ - ୧୧ ଜାନୁଆରୀ ୧୯୬୬) ଜଣେ ଭାରତୀୟ ରାଜନେତା ଯିଏ ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ସେ ଗୁଜରାଟର ଆନନ୍ଦ ଅମୁଲ ଦୁଗ୍ଧ ସମବାୟ ସମିତିକୁ ସମର୍ଥନ ତଥା ଜାତୀୟ ଦୁଗ୍ଧ ବିକାଶ ବୋର୍ଡ ଗଠନ କରି ଶ୍ଵେତ ବିପ୍ଳବକୁ ପ୍ରୋତ୍ସାହିତ କରିଥିଲେ । ଏହା ଥିଲା ଦୁଗ୍ଧର ଉତ୍ପାଦନ ତଥା ଯୋଗାଣ ବୃଦ୍ଧି ପାଇଁ ଏକ ଜାତୀୟ ଅଭିଯାନ । ଭାରତର ଖାଦ୍ୟ ଉତ୍ପାଦନକୁ ବୃଦ୍ଧି କରିବାର ଆବଶ୍ୟକତାକୁ ଦର୍ଶାଇ ଶାସ୍ତ୍ରୀ ୧୯୬୫ ମସିହାରେ ଭାରତରେ ସବୁଜ ବିପ୍ଳବକୁ ମଧ୍ୟ ପ୍ରୋତ୍ସାହିତ କରିଥିଲେ । ଏହା ଫଳରେ ବିଶେଷ କରି ପଞ୍ଜାବ, ହରିୟାଣା ଏବଂ ଉତ୍ତରପ୍ରଦେଶରେ ଖାଦ୍ୟ ଶସ୍ୟ ଉତ୍ପାଦନରେ ବୃଦ୍ଧି ଘଟିଥିଲା ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସମ୍ବିଧାନ ଅନୁସାରେ ଲୋକ ସଭା, ଭାରତର ଦ୍ୱିଗୃହ ଭାରତୀୟ ସଂସଦର ନିମ୍ନ ସଦନ । ଲୋକ ସଭାର ସଦସ୍ୟମାନେ ନିଜ ନିଜ ନିର୍ବାଚନ ମଣ୍ଡଳୀକୁ ପ୍ରତିନିଧିତ୍ୱ କରିବା ପାଇଁ ଏକ ସାର୍ବଭୌମିକ ବୟସ୍କ ମତାଧିକାର ଏବଂ ସିଧାସଳଖ ମତଦାନ ବ୍ୟବସ୍ଥାଦ୍ୱାରା ନିର୍ବାଚିତ ହୁଅନ୍ତି ଏବଂ ସେମାନେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ କିମ୍ବା ମନ୍ତ୍ରୀ ପରିଷଦର ପରାମର୍ଶ କ୍ରମେ ରାଷ୍ଟ୍ରପତିଙ୍କଦ୍ୱାରା ଲୋକ ସଭା ଭଙ୍ଗ ନହେବା ପର୍ଯ୍ୟନ୍ତ ସେମାନଙ୍କ ପଦବୀରେ ରହିଥାନ୍ତି । ନୂଆଦିଲ୍ଲୀସ୍ଥିତ ସଂସଦ ଭବନର ଲୋକ ସଭା କକ୍ଷରେ ଏହାର ଅଧିବେଶନ ଅନୁଷ୍ଠିତ ହୋଇଥାଏ। ଏଠାରେ ଭାରତର ୨୮ଟି ରାଜ୍ୟ ଓ ୮ଟି କେନ୍ଦ୍ର ଶାସିତ ଅଞ୍ଚଳରୁ ୫୪୩ ଜଣ ସାଂସଦ ପ୍ରତିନିଧିତ୍ୱ କରନ୍ତି।
ସମ୍ବିତ ଆଚାର୍ଯ୍ୟ, ଜଣେ ଓଡ଼ିଆ କଥାଚିତ୍ର ଅଭିନେତା । ସେ ଓଡ଼ିଆ କଥାଚିତ୍ର ପ୍ରେମ୍ ୱେଡ୍ସ ପ୍ରିୟା ଜରିଆରେ ୨୦୧୧ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ କଟକ, ବାଳୁଙ୍ଗା ଟୋକା, ଗଞ୍ଜା ଲଢ଼େଇ, ଚଉକା ଛକା ଆଦି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ସମ୍ବିତ ୨୦୧୮ ମସିହାରେ ଏକ ଓଡ଼ିଆ ଏବଂ ତେଲୁଗୁ ଚଳଚ୍ଚିତ୍ରରେ ଅଭିନୟ କରିବାର ସୁଯୋଗ ପାଇଥିଲେ ।
ଟୋରୀ ବର୍ଚ (ଜନ୍ମ: ୧୭ ଜୁନ୍ ୧୯୬୬) ଜଣେ ଆମେରିକୀୟ ଫ୍ୟାସନ ଡିଜାଇନର୍ ଏବଂ ବ୍ୟବସାୟୀ ମହିଳା ଏବଂ ପରୋପକାରୀ, ଯିଏକି ଅନେକ ଫ୍ୟାସନ ଡିଜାଇନିଂ ପୁରସ୍କାର ଜିତିଛନ୍ତି । ସେ ତାଙ୍କର ନିଜର ବ୍ୟବସାୟ ଟୋରୀ ବର୍ଚ ଏଲ୍.ଏଲ୍.ସିର ଅଧକ୍ଷ, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ଡିଜାଇନର୍ । ୨୦୧୫ରେ ଫୋରବେସ୍ଦ୍ୱାରା ହୋଇଥିବା ସର୍ଭେକ୍ଷଣ ଅନୁସାରେ ତାଙ୍କୁ ବିଶ୍ୱର ୭୩ତମ ଶକ୍ତିଶାଳୀ ମହିଳା ଭାବରେ ସ୍ଥାନିତ କରାଯାଇଥିଲା ।
ସନ୍ଦେହୀ ପ୍ରିୟତମା, ୨୦୧୩ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ନାରାୟଣ ଘଡ଼େଇ । ଗୌତମ ଗିରି ଏହି କଥାଚିତ୍ରଟିର କାହାଣୀ ଲେଖିଥିଲେ । ଚିନ୍ମୟ ଦାଶ ପଟ୍ଟନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଏବଂ ସଂଳାପ ରଚନା କରିଥିଲେ । ସୁଧାଂଶୁ ଶେଖର ମଲ୍ଲିକ୍ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବିଦ୍ୟୁତ୍ ରାୟ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ପାର୍ବତୀ ଗିରୀ (୧୯ ଜାନୁଆରୀ ୧୯୨୬- ୧୯୯୫) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ, ସେ ପଶ୍ଚିମ ଓଡ଼ିଶାର ମଦର ଟେରେସା ଭାବେ ପରିଚିତ । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ନାରୀ ସ୍ୱାଧୀନତା ସଂଗ୍ରାମୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛନ୍ତି । ସେ ଅବିଭାଜିତ ସମ୍ବଲପୁର ଜିଲ୍ଲା ତଥା ବର୍ତ୍ତମାନର ବରଗଡ଼ ଜିଲ୍ଲାର ବିଜେପୁର ନିକଚବର୍ତ୍ତୀ ସମଲାଇପଦର ଗ୍ରାମରେ ୧୯ ଜାନୁଆରୀ ୧୯୨୬ ମସିହାରେ ଜନ୍ମଗ୍ରହଣ କରିଥିଲେ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପ୍ରଦୂଷଣ ହେଉଛି ପ୍ରାକୃତିକ ପରିବେଶରେ ପ୍ରଦୂଷକ ପଦାର୍ଥର ପରିଚୟ, ଯାହା ସ୍ୱାଭାବିକ ପ୍ରକୃତିରେ ପ୍ରତିକୂଳ ପରିବର୍ତ୍ତନ ଆଣିଥାଏ । ପ୍ରଦୂଷଣ ରାସାୟନିକ ପଦାର୍ଥ ବା ଶକ୍ତିର ରୂପ ନେଇପାରେ, ଯେପରିକି ଶବ୍ଦ, ଉତ୍ତାପ କିମ୍ବା ଆଲୋକ । ପ୍ରଦୂଷଣ, ପ୍ରଦୂଷଣର ଉପାଦାନ, ବିଦେଶୀ ପଦାର୍ଥ/ଶକ୍ତି କିମ୍ବା ପ୍ରାକୃତିକ ଭାବରେ ଘଟୁଥିବା ପ୍ରଦୂଷକ ହୋଇପାରେ । ପ୍ରଦୂଷଣ ପ୍ରାୟତଃ ଏକ ନିର୍ଦ୍ଧିଷ୍ଟ ଉତ୍ସ କିମ୍ବା ବହୁ ଉତ୍ସଜନିତ ପ୍ରଦୂଷଣ ଭାବରେ ଶ୍ରେଣୀଭୁକ୍ତ ହୋଇଥାଏ । ୨୦୧୫ରେ, ପ୍ରଦୂଷଣରେ ବିଶ୍ୱରେ ୯ ନିୟୁତ ଲୋକ ପ୍ରାଣ ହରାଇଥିଲେ।
ହରିହର ମିଶ୍ର (୧୯ ନଭେମ୍ବର ୧୯୪୦ - ୨୩ ସେପ୍ଟେମ୍ବର ୨୦୨୪) ଜଣେ ଓଡ଼ିଆ କବି, ଗାଳ୍ପିକ, ଅନୁବାଦକ ଓ ନାଟ୍ୟକାର ଥିଲେ । ବୃତ୍ତିରେ ସେ ଥିଲେ ଜଣେ ଅଧ୍ୟାପକ । ସେ ସାହିତ୍ୟ ସର୍ଜନା ସହିତ ସେ ବେତାର ନାଟକରେ ମଧ୍ୟ ଅଭିନୟ କରିଛନ୍ତି । ୨୦୧୬ମସିହାରେ, ସେ ଓଡ଼ିଶା ସାହିତ୍ୟ ଏକାଡେମିର ୩୧ତମ ସଭାପତି ଭାବରେ ନିଯୁକ୍ତ ହୋଇଥିଲେ । । ୧୯୭୦/୮୦ ଦଶକରେ ଓଡ଼ିଆ ସାହିତ୍ୟରେ ପ୍ରଭାବ ବିସ୍ଥାର କରିଥିବା ଅନାମ କବିତା ଆନ୍ଦୋଳନରେ ସେ ସଂଶ୍ଳିଷ୍ଠ ଥିଲେ ।
ମନକୋମ୍ବୁ ସାମ୍ବାଶିବନ ସ୍ୱାମୀନାଥନ (୭ ଅଗଷ୍ଟ ୧୯୨୫ - ୨୮ ସେପ୍ଟେମ୍ବର ୨୦୨୩) ଜଣେ ଭାରତୀୟ କୃଷି ବିଜ୍ଞାନୀ, କୃଷି ବୈଜ୍ଞାନିକ, ଉଦ୍ଭିଦ ଜେନେଟିକ୍ସ, ପ୍ରଶାସକ ଏବଂ ମାନବିକତାବାଦୀ ଥିଲେ । ସ୍ୱାମୀନାଥନ୍ ସବୁଜ ବିପ୍ଳବର ଏକ ବିଶ୍ୱସ୍ତରୀୟ ନେତା ଥିଲେ । ଗହମ ଏବଂ ଚାଉଳର ଉଚ୍ଚ ଉତ୍ପାଦନକାରୀ ପ୍ରଜାତିର ପରିଚୟ ଏବଂ ବିକାଶରେ ତାଙ୍କର ନେତୃତ୍ୱ ଏବଂ ଭୂମିକା ପାଇଁ ତାଙ୍କୁ ଭାରତରେ ସବୁଜ ବିପ୍ଳବର ମୁଖ୍ୟ ସ୍ଥାପକ ବୋଲି କୁହାଯାଏ । କୃଷକ ଏବଂ ଅନ୍ୟ ବୈଜ୍ଞାନିକମାନଙ୍କ ସହ ଜନ ଆନ୍ଦୋଳନର ନେତୃତ୍ୱ ନେଉଥିବା ଏବଂ ସାର୍ବଜନୀନ ନୀତିଦ୍ୱାରା ସମର୍ଥିତ ନର୍ମାନ ବୋର୍ଲାଗଙ୍କ ସହ ସ୍ୱାମୀନାଥନଙ୍କ ସହଯୋଗୀ ବୈଜ୍ଞାନିକ ପ୍ରୟାସ ୧୯୬୦ ଦଶକରେ ଭାରତ ଏବଂ ପାକିସ୍ତାନକୁ କେତେକ ଦୁର୍ଭିକ୍ଷ ଭଳି ପରିସ୍ଥିତିରୁ ରକ୍ଷା କରିଥିଲା । ଫିଲିପାଇନ୍ସର ଅନ୍ତର୍ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ (ଆଇଆରଆରଆଇ)ର ମହାନିର୍ଦ୍ଦେଶକ ଭାବରେ ତାଙ୍କର ନେତୃତ୍ୱ ୧୯୮୭ ମସିହାରେ ପ୍ରଥମ ବିଶ୍ୱ ଖାଦ୍ୟ ପୁରସ୍କାରରେ ସମ୍ମାନିତ ହେବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା, ଯାହା କୃଷି କ୍ଷେତ୍ରରେ ଅନ୍ୟତମ ସର୍ବୋଚ୍ଚ ସମ୍ମାନ ଭାବରେ ସ୍ୱୀକୃତି ପାଇଥିଲା । ଜାତିସଂଘ ପରିବେଶ କାର୍ଯ୍ୟକ୍ରମ ତାଙ୍କୁ "ଅର୍ଥନୈତିକ ପରିବେଶର ପିତା" ବୋଲି କହିଛି ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ପ୍ରତିଭା ପଣ୍ଡା ଜଣେ ଓଡ଼ିଆ ଅଭିନେତ୍ରୀ ଓ ଓଡ଼ିଶୀ ନୃତ୍ୟଗୁରୁ ଯିଏକି ମୁଖ୍ୟତଃ ଓଡ଼ିଆ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରନ୍ତି । ୧୯୮୯ ମସିହାରେ ପଞ୍ଚୁ ପାଣ୍ଡବ କଥାଚିତ୍ର ଜରିଆରେ ଅଭିନୟ ଆରମ୍ଭ କରିବା ପରେ କିଛି ଓଡ଼ିଆ କଥାଚିତ୍ର ଓ ହିନ୍ଦୀ ଧାରାବାହିକରେ ଅଭିନୟ କରିବା ଦୁର୍ଘଟଣା ଯୋଗୁଁ ଅଭିନୟ ଜଗତରୁ ଦୂରେଇ ଯାଇଥିଲେ ଏବଂ ୨୦୦୮ ମସିହାରେ କଳିଙ୍ଗ ପୁତ୍ର କଥାଚିତ୍ର ଜରିଆରେ ପୁଣିଥରେ ଅଭିନୟ ଆରମ୍ଭ କରିଥିଲେ । ନୃତ୍ୟ ପ୍ରତିଭା ନାମକ ଏକ ନୃତ୍ୟାନୁଷ୍ଠାନ କରି ସେ ନୃତ୍ୟ ଶିକ୍ଷା ଦେଉଛନ୍ତି ।
ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ଗିରିଜା କୁମାର ବଳୀୟାରସିଂହ ଜଣେ ଓଡ଼ିଆ କବି ଓ ସାହିତ୍ୟିକ । ତାଙ୍କର କବିତା ସଙ୍କଳନ “ଭାରତ ବର୍ଷ” ପାଇଁ ସେ ୨୦୦୬ ମସିହାରେ କାବ୍ୟ କବିତା ବର୍ଗରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରଦ୍ୱାରା ସମ୍ମାନିତ ହୋଇଥିଲେ । ଗିରିଜା କୁମାର ବଳୀୟାରସିଂହଙ୍କର ଏକ ପ୍ରକାଶନ ସଂସ୍ଥା ମଧ୍ୟ ରହିଛି ଯାହା ମାଧ୍ୟମରେ ସେ ଓଡ଼ିଆ ସାହିତ୍ୟର ପ୍ରଚାର ଓ ପ୍ରସାରରେ ସମୟ ବିନିଯୋଗ କରିଥାନ୍ତି ।