ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଶୋଲେ (ଅନୁବାଦ: Sholay) ୧୯୭୫ର ଏକ ଭାରତୀୟ ହିନ୍ଦୀ ରୋମାଞ୍ଚକର ଚଳଚ୍ଚିତ୍ର ଅଟେ । ସଲିମ-ଜାଭେଦ ଦ୍ୱାରା ଲିଖିତ ଏହି ଫିଲ୍ମଟି ଗୋପାଲ ଦାସ ସିପ୍ପିଙ୍କ ନିର୍ମାଣ ଏବଂ ତାଙ୍କ ପୁଅ ରମେଶ ସିପ୍ପିଙ୍କ ନିର୍ଦ୍ଦେଶନାରେ ନିର୍ମିତ ହୋଇଛି । ଏହି କାହାଣୀ ଜୟ (ଅମିତାଭ ବଚ୍ଚନ) ଏବଂ ୱୀରୁ (ଧର୍ମେନ୍ଦ୍ର) ନାମକ ଦୁଇ ଅପରାଧୀଙ୍କ ଉପରେ କେନ୍ଦ୍ରିତ ଅଟେ, ଯେଉଁମାନଙ୍କୁ ଡାକୁ ଗବର୍ ସିଂହ (ଅମଜଦ ଖାନ) ସହ ନିଜର ପୁରୁଣା ଶତ୍ରୁତାର ପ୍ରତିଶୋଧ ନେବାକୁ ପୂର୍ବତନ ପୋଲିସ ଅଧିକାରୀ ଠାକୁର ବଲଦେଵ ସିଂହ (ସଂଜୀବ କୁମାର) ଦ୍ୱାରା ଗାଁକୁ ଅଣାଯାଏ । ଜୟା ବଚ୍ଚନ (ଭାଦୁରି) ଏବଂ ହେମା ମାଳିନୀ ମଧ୍ୟ ଏହି ଫିଲ୍ମରେ ମୁଖ୍ୟ ଭୂମିକା ନିଭାଇଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଅସୀମା ପଣ୍ଡା ଜଣେ ଓଡ଼ିଆ କଣ୍ଠଶିଳ୍ପୀ । ସେ ମୁଖ୍ୟତଃ ଓଡ଼ିଆ ଏବଂ ସମ୍ବଲପୁରୀ ଗୀତ ଗାଆନ୍ତି । ଅସୀମା ଓଡ଼ିଆ ଆଲବମ୍, ଭଜନ ଓ କଥାଚିତ୍ର ଜଗତରେ ଜଣେ ଜଣାଶୁଣା ଗାୟିକା । ଅସୀମା ପଣ୍ଡା ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ଗାଇବା ଆରମ୍ଭ କରିଥିଲେ । ଓଡ଼ିଆ କଥାଚିତ୍ର ହରି ଓମ୍ ହରିରେ ସେ ପ୍ରଥମଥର ପାଇଁ ଓଡ଼ିଆ କଥାଚିତ୍ର ପାଇଁ ଗୀତ ଗାଇଥିଲେ ଏବଂ ଏହାପରେ ଗଞ୍ଜା ଲଢ଼େଇ, ୱାନ୍ ୱେ ଟ୍ରାଫିକ୍, ଗଞ୍ଜା ଲଢ଼େଇ, ଆଶିକ୍, ତୁ କହିବୁ ନା ମୁଁ, ତୁ ମୋର ସପନ ରାଣୀ, ପ୍ରେମର ନିଶା ନିଆରା ନିଆରା, ମୁଁ ପରଦେଶୀ ଚଢ଼େଇ, ତୁ ମୋ ସୁନା ଚଢ଼େଇ, ଫ୍ରମ୍ ମି ଟୁ ୟୁ, ଟାଇଗର, ଲଭ୍ ଟୁଇଷ୍ଟ, ମୁଁ ଖାଣ୍ଟି ଓଡ଼ିଆ ଝିଅ, ତୋ ପ୍ରେମରେ ପଡ଼ିଲା ପରେ, ଏମିତି ବି ହେଇପାରେ, ଅଭିମାନ, ମୁଇଁ ଦିୱାନା ତୁଇ ଦିୱାନୀ, ତୁ ମୋ ହିରୋ, ଅଦୃଶ୍ୟମ୍, ବାପା ତମେ ଭାରି ଦୁଷ୍ଟ, ଦେଲେ ଧରା କଥା ସରେ, ସୀତାରାମଙ୍କ ବାହାଘର କଳିଯୁଗରେ, ସେଲଫିସ୍ ଦିଲ୍, ଏକ୍ସକ୍ୟୁଜ ମି, ଲୋକାଲ ଟୋକା ଲଭ୍ ଚୋଖା, ପ୍ୟାର ଅଲଗା ପ୍ରକାର, ଲଭ୍ ଏକ୍ସପ୍ରେସ୍, ଟିକେ ଅନାଡ଼ି ପୂରା ଖିଲାଡ଼ି, ନାୟକର ନାଁ ଦେବଦାସ, ମିଠା ମିଠା, ଲୈଲା ଓ ଲୈଲା, ହାପି ଲକି, ହେଲୋ- ଇନ୍ ଲଭ୍, ଟୋକାଟା ଫସିଗଲା, ଯୋଗୀ, ବିଶ୍ୱରୂପ ଆଦି କଥାଚିତ୍ରରେ କଣ୍ଠଦାନ କରିଥିଲେ । ଅସୀମା ଓଡ଼ିଆ କଥାଚିତ୍ର ବ୍ୟତୀତ ବିଭିନ୍ନ ଆଲବମ୍ ଗୀତ ଏବଂ ଭଜନରେ କଣ୍ଠଦାନ କରିଛନ୍ତି । ପ୍ରାର୍ଥନା ଟିଭିରେ ପ୍ରସାରିତ ଭଜନ ଅନ୍ତାକ୍ଷରୀ, ପ୍ରାର୍ଥନା ମଞ୍ଚ ଭଳି କାର୍ଯକ୍ରମରେ ଭଜନ ପରିବେଷଣ କରନ୍ତି ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗଉଡ଼ ନାଚ ବା ବାଡ଼ିଖେଳ ବା ଲଉଡ଼ି ଖେଳ ଓଡ଼ିଶାର ଯାଦବ (ଗୋପାଳ) ସମ୍ପ୍ରଦାୟଙ୍କର ପାରମ୍ପରିକ ନୃତ୍ୟ। କେତକ ସ୍ଥାନରେ ଏହାକୁ ଦାଣ୍ଡି ଖେଳ ମଧ୍ୟ କୁହାଯାଏ । ସାରା ଓଡ଼ିଶାର ଗୋପାଳ ସଂପ୍ରଦାୟ ଏହାକୁ ପାଳନ କରିଥାନ୍ତି । ଏହା ଓଡ଼ିଶାର ଏକ ପାରମ୍ପରିକ ଲୋକ କଳା । ଏହା ଯାଦବ ବହୁଳ ଉତ୍ତର ପ୍ରଦେଶରେ ମଧ୍ୟ ଦେଖାଯାଏ ନାହିଁ । କିପରି ଏକ ଭିନ୍ନ ସାମରିକ ଖେଳ ଓଡ଼ିଶାରେ ପ୍ରଚଳିତ ଥିଲା ଏବେ ବି ଏହାର ପୃଷ୍ଠଭୂମି ଅନେକଙ୍କୁ ଅଗୋଚର । ଗୋପାଳ ବା ଯାଦବ ପୁରୁଷମାନେ ନିଜର ଶକ୍ତି, ପରାକ୍ରମ ତଥା ବାଡିର ଅନନ୍ୟ କଳାକୈାଶଳ ପ୍ରଦର୍ଶନକୁ ବାଡ଼ିଖେଳ ବା ଲଉଡ଼ି ଖେଳ କୁହାଯାଏ । ଏହା ଧର୍ମଭିତ୍ତିକ, ରଣକୌଶଳ ପ୍ରଦର୍ଶନ କରାଯାଉଥିବା ଏକ ଲୋକନୃତ୍ୟ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ୱ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ୱାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ୱତନ୍ତ୍ର ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସରୋଜିନୀ ସାହୁ ଜଣେ (ଜନ୍ମ ୧୯୫୬) ଭାରତୀୟ ଓଡ଼ିଆ-ଭାଷୀ ଔପନ୍ୟାସିକା, ଗାଳ୍ପିକା, କବି, ପ୍ରାବନ୍ଧିକା । ତାଙ୍କର ସାହିତ୍ୟ କୃତି ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମି ପୁରସ୍କାର ଓ ଶାରଳା ପୁରସ୍କାରରେ ସମ୍ମାନୀତ । ସେ ଜଣେ ଭାରତୀୟ ନାରୀବାଦୀ ଲେଖିକା ଭାବରେ ଜଣାଶୁଣା ଓ ଇଂରାଜୀ ଖବରକାଗଜ ଦି ନିଉ ଇଣ୍ଡିଆନ ଏକ୍ସପ୍ରେସର ନିୟମିତ ପ୍ରାବନ୍ଧିକା ଓ ଚେନ୍ନାଇରେ ଥିବା ଇଂରାଜୀ ପତ୍ରିକା ଇଣ୍ଡିଆନ ଏଜର ସହ-ସମ୍ପାଦିକା । ସେ କିଣ୍ଡଲେ ପତ୍ରିକା ଦ୍ୱାରାଭାରତର ୨୫ ଜଣ ଅସାଧାରଣ ନାରୀଙ୍କ ମଧ୍ୟରୁ ଜଣେ ଭାବେ ନିର୍ବାଚିତା ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଏବଂ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ପ୍ରକ୍ରିୟାକରଣ କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର ( RAM memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ତର୍କ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୧୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭରତୀୟ ଡାକ ବିଭାଗ (ଇଣ୍ଡିଆ ପୋଷ୍ଟ ବ୍ୟବସାୟିକ ଚିହ୍ନସହ କାର୍ଯ୍ୟକରେ) ଭାରତ ସରକାରଙ୍କଦ୍ୱାରା ପରିଚାଳିତ ଭାରତର ଡାକ ସେବା ଅଟେ । ଏହାକୁ ଡାକଘର ବୋଲି ମଧ୍ୟ କୁହାଯାଏ । ଭାରତୀୟ ଡାକ ସେବାରେ ୧୫୫,୩୩୩ଟି ଡାକଘର ଅଛି, ଏବଂ ଏହା ବିଶ୍ୱସ୍ଥରରେ ବଣ୍ଟନ ହେଇଥିବା ଡାକସେବାଗୁଡ଼ିକ ମଧ୍ୟରୁ ଅନ୍ୟତମ । ଭାରତୀୟ ଡାକ ସେବା ନିଜର ସେବା କେବଳ ସହରରେ ହିଁ ନୁହେଁ ବରଂ ଦୂରବର୍ତ୍ତୀ ଜାଗାରେ ମଧ୍ୟ ସେବା ଯୋଗାଏ । ଭାରତୀୟ ଡାକ ସେବା କେବଳ ଚିଠି ଆଦାନ ପ୍ରଦାନ କରେନି, ଏହା କାର୍ଯ୍ୟାଳୟ ସେବା, ବ୍ୟାଙ୍କ ସେବା ଏବଂ ଅତ୍ୟଧିକ ସେବା ମଧ୍ୟ ପ୍ରଦାନ କରେ ।
ଛ ମାଣ ଆଠ ଗୁଣ୍ଠ ୧୮୯୭ ମସିହାରେ ଫକୀର ମୋହନ ସେନାପତିଙ୍କ ରଚିତ ଏକ ଓଡ଼ିଆ ଉପନ୍ୟାସ । ଏହା ପ୍ରଥମେ ଏକ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା । ଫକୀର ମୋହନ ଏହାକୁ "ଧୂର୍ଜଟୀ" ଛଦ୍ମନାମରେ ପ୍ରକାଶ କରାଇଥିଲେ । ସେତେବେଳର ଓଡ଼ିଶାର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା । ୧୯୮୬ରେ ପାର୍ବତୀ ଘୋଷ ଏହି ଉପନ୍ୟାସକୁ ଆଧାର କରି ସମାନ ନାମରେ ଏକ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ରାହୁଳ ଶରଦ ଦ୍ରାବିଡ଼ ଉଚ୍ଚାରଣ (ଜନ୍ମ ୧୧ ଜାନୁଆରୀ ୧୯୭୩) ଜଣେ ପୂର୍ବତନ ଭାରତୀୟକ୍ରିକେଟ ଖେଳାଳି ଓ ଭାରତୀୟ ଟେଷ୍ଟ କ୍ରିକେଟ ତଥା ୱାନ ଡେ ଇଣ୍ଟରନ୍ୟାସନାଲ ଟିମର ଅଧିନାୟକ ଅଟନ୍ତି । ରାହୁଳ ଶ୍ରେଷ୍ଠ ପାଞ୍ଚ ଜଣ ଉଇସଡେନ କ୍ରିକେଟିଅର ଅଫ ଦି ଇଅର ଭାବରେ ୨୦୦୦ ମସିହାରେ ସମ୍ମାନୀତ ହୋଇଛନ୍ତି । ରାହୁଳ ଆଇ.ସି.ସି ପ୍ଲେଅର ଅଫ ଦି ଇଅର ଏବଂ ଟେଷ୍ଟ ପ୍ଲେଅର ଅଫ ଦି ଇଅର ଭାବରେ ଉନ୍ମୋଚନ ପୁରସ୍କାର ମହୋତ୍ସବରେ ୨୦୦୪ରେ ସମ୍ମାନୀତ ରାହୁଳ ଟେଷ୍ଟ ଖେଳରେ ସବୁଠାରୁ ଅଧିକ କ୍ୟାଚ ନେଇ ରେକର୍ଡ଼ ତିଆରି କରିଛନ୍ତି । ୯ ମାର୍ଚ ୨୦୧୨ରେ ସେ ଇଣ୍ଟରନ୍ୟାସନାଲ କ୍ରିକେଟରୁ ଅବସର ନେଲେ ବୋଲି ଘୋଷଣା କଲେ । ରାହୁଳ ପଞ୍ଚମ ଭାରତୀୟ କ୍ରିକେଟ ଖେଳାଳି ଭାବେ ୧ ନଭେମ୍ବର ୨୦୧୮ ତାରିଖରେ ଆଇ.ସି.ସି.
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଦୟାନନ୍ଦ ସରସ୍ୱତୀ (ଖ୍ରୀ.ଅ ୧୮୨୪ - ୧୮୮୩) ଥିଲେ ଜଣେ ଲେଖକ, ସମାଜ ସଂସ୍କାରକ ଓ ଆର୍ଯ୍ୟ ସମାଜର ସଂସ୍ଥାପକ । ଦୟାନନ୍ଦ ସଂସ୍କୃତ ଓ ହିନ୍ଦୀ ଭାଷାରେ ପ୍ରଭାବଶାଳୀ ବକ୍ତା ଭାବେ ପରିଚିତ । ସେ କହୁଥିଲେ ମୃତ ବ୍ୟକ୍ତିକୁ ଶ୍ରାଦ୍ଧ ତର୍ପଣ ନଦେଇ ଜୀବିତ ପିତାମାତା ଓ ବୃଦ୍ଧ ବ୍ୟକ୍ତିକୁ ସେବା କରିବା ହେଲା ପିତୃଯଜ୍ଞ । ଫଳିତ ଜ୍ୟୋତିଷ, ସାମୁଦ୍ରିକ ବିଦ୍ୟା, ହସ୍ତରେଖା ଆଦି ଅଯଥାର୍ଥ ଓ ଅନାବଶ୍ୟକ କାମ । ଲୈାକିକ ବ୍ୟବହାରରେ ସାଧୁତା, ଯଥାର୍ଥ କର୍ମସାଧନା, କର୍ତ୍ତବ୍ୟ ପ୍ରତି ନିଷ୍ଠା ବଳରେ ପ୍ରାଣୀ ଫଳପ୍ରାପ୍ତ ହୁଅନ୍ତି ପ୍ରତିମା ପୂଜାଦେଇ ନୁହେଁ । ତାଙ୍କର ଉପଲବ୍ଧ ସତ୍ୟକୁ ପ୍ରତିପାଦିତ କରିବାକୁ ଯାଇ ସେ ଅପୌତ୍ତଳିକତା ଓ ନିଚ୍ଛକ ବୈଦିକ ସତ୍ୟର ଆଲୋଚନା ପାଇଁ ଆର୍ଯ୍ୟ ସମାଜ ସ୍ଥାପନ କରିଥିଲେ । ଆର୍ଯ୍ୟ ସମାଜ ଜରିଆରେ ଶିକ୍ଷାର ପ୍ରସାର କରାଇ ନାରୀକୁ ପୁରୁଷ ସହ ସମାନ ଅଧିକାର ଦେବାର ଯୁକ୍ତି ସେ ଦର୍ଶାଇଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହୋଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
କଟକ, କଟକ ଜିଲ୍ଲାର ମୁଖ୍ୟାଳୟ ହେବା ସହିତ ଓଡ଼ିଶାର ଉପ-ରାଜଧାନୀ ତଥା ତତ୍ ସହିତ ରାଜ୍ୟର ସର୍ବପୁରାତନ ନଗର ମଧ୍ୟ । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ପାଖରେ ଭୁବନେଶ୍ୱର, ପୁରୀ ଓ କୋଣାର୍କର ଅଛି । ୧୯୬୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ପ୍ରାଚୀ ବୈଷ୍ଣବ ଜଣେ ଭାରତୀୟ ଅଭିନେତ୍ରୀ ଓ ମଡେଲ୍ । ସେ ମୁଖ୍ୟତଃ ଟେଲିଭିଜନ୍ ଧାରାବାହିକ ଓ ୱେବ୍ ସିରିଜ୍ରେ କାମ କରନ୍ତି । ଷ୍ଟାର୍ ଭାରତରେ ପ୍ରସାରିତ ହିନ୍ଦୀ ଟେଲିଭିଜନ ଧାରାବାହିକ ଆମ୍ମା କେ ବାବୁ କି ବେବି (୨୦୨୧)ରେ ତାଙ୍କ ଅଭିନୀତ ଭୂମିକା ନିଶା ପାଇଁ ସେ ଜଣାଶୁଣା । ଏହା ବ୍ୟତୀତ ଅଲ୍ଟ ବାଲାଜୀରେ ପ୍ରସାରିତ ୱେବ୍ ସିରିଜ୍ ବ୍ୟାଙ୍ଗ୍ ବ୍ୟାଙ୍ଗ୍ରେ ପୁନମ ଭୂମିକା ପାଇଁ ସେ ପରିଚିତ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ ।
ଜ୍ୟୋତିଷଶାସ୍ତ୍ର ଏକ ଛଦ୍ମ ବିଜ୍ଞାନ ଅଟେ, ଯାହା ଖଗୋଳିୟ ପିଣ୍ଡର ଚଳଣୀ ଏବଂ ସାପେକ୍ଷ ସ୍ଥିତିର ଅଧ୍ୟୟନ କରି ମନୁଷ୍ୟ ସମ୍ବନ୍ଧୀୟ ବିଷୟ ଏବଂ ସାଂସାରିକ ଘଟଣା ସମ୍ବନ୍ଧରେ ଦିବ୍ୟ କଥାବସ୍ତୁର ଦାବି କରିଥାଏ । ଏହି ଶାସ୍ତ୍ରଦ୍ୱାରା ମନୁଷ୍ୟ ତଥା ପୃଥିବୀର ଗ୍ରହ ଏବଂ ତାରାମାନଙ୍କର ଶୁଭ ତଥା ଅଶୁଭ ପ୍ରଭାବର ଅଧ୍ୟୟନ କରାଯାଇ ପାରେ । ଜ୍ୟୋତିଷ ଶବ୍ଦର ଅର୍ଥ ଗ୍ରହ ତଥା ନକ୍ଷତ୍ରଦ୍ୱାରା ସମ୍ବନ୍ଧିତ ରଖୁଥିବା ବିଦ୍ୟା । ଯଦିଓ ଏହି ଶବ୍ଦରୁ ଗଣିତ (ସିଦ୍ଧାନ୍ତ) ଜ୍ୟୋତିଷର ମଧ୍ୟ ବୋଧ ହୋଇଥାଏ, ତଥାପି ସାଧାରଣ ଲୋକ ଜ୍ୟୋତିଷ ବିଦ୍ୟାଦ୍ୱାରା ଫଳିତ ବିଦ୍ୟାର ଅର୍ଥ ବୋଲି ଭାବି ନିଅନ୍ତି।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ଫେବୃଆରୀ ଜୁଲିଆନ ଓ ଗ୍ରେଗୋରିଆନ କ୍ୟାଲେଣ୍ଡରରେ ବର୍ଷର ଦ୍ୱିତୀୟ ମାସ । ସାଧାରଣତଃ ଫେବୃଆରୀ ମାସ ୨୮ ଦିନିଆ ହୋଇଥାଏ । ତେବେ ଅଧିବର୍ଷରେ ଏହା ୨୯ ଦିନିଆ ହୋଇଥାଏ । କ୍ୟାଲେଣ୍ଡର ବା ପଞ୍ଚାଙ୍ଗ ସହ ଖଗୋଳୀୟ ଘଟଣାବଳୀରେ ସାମ୍ୟତା ଆଣିବା ଉଦ୍ଦେଶ୍ୟରେ ଅଧିବର୍ଷ ବ୍ୟବସ୍ଥାକୁ ଫେବୃଆରୀ ମାସ ସହ ଯୋଡ଼ା ଯାଇଛି । ତେବେ ବାରମାସ ମଧ୍ୟରେ ଫେବୃଆରୀ ହେଉଛି ବର୍ଷର ସବୁଠାରୁ ଛୋଟ ମାସ ।