ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପ୍ରତିଶବ୍ଦ - ଆନିମିଆ, ରକ୍ତ କ୍ଷୀଣତା ରକ୍ତହୀନତା ଶବ୍ଦର ଆକ୍ଷରିକ ଅର୍ଥ ଅଳ୍ପ ରକ୍ତ ହେଲେ ମଧ୍ୟ ପ୍ରକୃତରେ ରକ୍ତରେ ଥିବା ଲୋହିତ ରକ୍ତ କଣିକା ଅଳ୍ପ ତଥା ତୃଟିଯୁକ୍ତ ଥିଲେ ବା ହେମୋଗ୍ଲୋବିନ ପରିମାଣ କମ ଥିଲେ ରକ୍ତହୀନତା ରୋଗ ନିର୍ଣ୍ଣୟ କରାଯାଏ ।> ହେମୋଗ୍ଲୋବିନର ଅମ୍ଳଜାନ ଗ୍ରହଣ କରିବା ଶକ୍ତି କମ ଥିଲେ ମଧ୍ୟ ରକ୍ତହୀନତା କୁହାଯାଏ । ଇଂରାଜୀରେ ଏହି ରୋଗକୁ ଆନିମିଆ କହନ୍ତି । ଆନିମିଆ ଶବ୍ଦଟି ପୁରୁଣା ଗ୍ରୀକ ଶବ୍ଦରୁ ଆସିଛି ଯାହାର ଅର୍ଥ 'ନାହିଁ ରକ୍ତ' (ἀναιμία anaimia, meaning lack of blood, from ἀν- an-, "not" + αἷμα haima, "blood")। ଲୋହିତ ରକ୍ତ କଣିକାରେ ଥିବା ହେମୋଗ୍ଲୋବିନ ଫୁସଫୁସରୁ ଅମ୍ଳଜାନ ସଂଗ୍ରହ କରି ସାରା ଶରୀରରେ ଥିବା କ୍ୟାପିଲାରି ବା ଅତି ସୂକ୍ଷ୍ମ ରକ୍ତ ନଳୀ (Capillary) ପର୍ଯ୍ୟନ୍ତ ବହନ କରେ ଓ ଦେହର ସମୁଦାୟ ଜୀବକୋଷଙ୍କୁ ବାଣ୍ଟେ । ଏଣୁ ଆନିମିଆ ହେଲେ ରକ୍ତରେ ଅମ୍ଳଜାନ ପରିମାଣ କମିଯାଏ ଯାହାକୁ ହାଇପୋକ୍ସିଆ କହନ୍ତି । ପ୍ରତ୍ୟେକ ଜୀବକୋଷ ବଞ୍ଚିବା ନିମନ୍ତେ ଅମ୍ଳଜାନ ଆବଶ୍ୟକ କରେ, ଏଣୁ ହେମୋଗ୍ଲୋବିନ ଅଭାବରେ ଅମ୍ଳଜାନ ଅଭାବ ହୁଏ ଓ ଏହାର ଅଭାବ ହେଲେ ଅନେକ ପ୍ରକାର ଲକ୍ଷଣ ପ୍ରକାଶ ପାଏ । ଆନିମିଆ ଧୀରେ ଧୀରେ ଆସିଲେ ଲକ୍ଷଣ ଅସ୍ପଷ୍ଟ ହୁଏ: ଥକ୍କାଣ, ଦୂର୍ବଳତା, ଛୋଟ ଶ୍ୱାସକ୍ରିୟା ବା ବ୍ୟାୟାମ ଅକ୍ଷମତା ଦେଖାଯାଏ । ଶୀଘ୍ର ହେଉଥିବା ଆନିମିଆ ଲକ୍ଷଣ: ଚିତ୍ତଭ୍ରମ ହୁଏ, ଅଚେତ ହେବା ଭଳି ଲାଗେ ଓ ଅଧିକ ଶୋଷ ହୁଏ । ଶେତା ଦେଖାଯିବା ନିମନ୍ତେ ଅଧିକ ଆନିମିଆ ଆବଶ୍ୟକ । ଅନ୍ତର୍ନିହିତ କାରଣ ଅନୁସାରେ ଅନ୍ୟାନ୍ୟ ଲକ୍ଷଣ ଦେଖାଯାଏ । ରକ୍ତସ୍ରାବ, ଲୋହିତ ରକ୍ତ କଣିକା (ଲୋ.ର.କ.) କମ୍ ତିଆରି ଓ ଅଧିକ ଲୋ.ର.କ. ଭାଙ୍ଗିବା- ଏହି ତିନି କାରଣ ଯୋଗୁ ରୋଗ ହୁଏ । ରକ୍ତକ୍ଷୟର କାରଣ ମଧ୍ୟରେ ଆଘାତ ଖାଦ୍ୟନଳୀ ରକ୍ତସ୍ରାବ ପ୍ରଧାନ । ସ୍ୱଳ୍ପ ତିଆରି କାରଣମାନଙ୍କ ମଧ୍ୟରେ ଦେହରେ ଲୌହ ଅଭାବ, ଭିଟାମିନ ବି୧୨ ଅଭାବ, ଥାଲାସେମିଆ ଓ ଅନେକ ଅସ୍ଥିମଜ୍ଜା ଅର୍ବୁଦ ପ୍ରଧାନ । ଅଧିକ ଭାଙ୍ଗିବା କାରଣ ମଧ୍ୟରେ ମ୍ୟାଲେରିଆ ଓ କେତେକ ଅଟୋଇମ୍ମ୍ୟୁନ ରୋଗ ପ୍ରଧାନ । ଲୋ.ର.କ.ର ଆକାର (size of red blood cells) ଓ ପ୍ରତି କଣିକାରେ ଥିବା ହେମୋଗ୍ଲୋବିନ ପରିମାଣ (amount of hemoglobin in each cell) ଅନୁସାରେ ଏହାକୁ ବର୍ଗୀକରଣ କରାଯାଏ । ଲୋ.ର.କ. ଛୋଟ ହେଲେ ମାଇକ୍ରୋସାଇଟିକ ଆନିମିଆ, ବଡ଼ ହେଲେ ମାକ୍ରୋସାଇଟିକ ଆନିମିଆ ଓ ଅପରିବର୍ତ୍ତିତ ଥିଲେ ନର୍ମୋସାଇଟିକ ଆନିମିଆ କୁହାଯାଏ । ଆନିମିଆ ରୋଗ ନିର୍ଣ୍ଣୟ କରିବା ନିମନ୍ତେ ହେମୋଗ୍ଲୋବିନ ପୁରୁଷଙ୍କଠାରେ ୧୩ରୁ୧୪ଗ୍ରା/ଡେ.ଲି.
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଚଇତି ଘୋଡ଼ା ନାଚ (ଘୋଡ଼ା ନାଚ, ଚଇତାଳି ଘୋଡ଼ା ନାଟ ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ପାରମ୍ପରିକ ଲୋକନୃତ୍ୟ । ଏହା ମୁଖ୍ୟତଃ ଓଡ଼ିଶାର ଉପକୂଳ ଅଞ୍ଚଳରେ କେଉଟମାନଙ୍କଦ୍ୱାରା ଆରମ୍ଭ ହୋଇ ସେହି ଅଞ୍ଚଳମାନଙ୍କରେ ଚୈତ୍ର ମାସ ପୂର୍ଣ୍ଣିମା ତିଥିରେ ପରିବେଷିତ ହୋଇଥାଏ । କେଉଟମାନେ ବାଉଁଶ ବତାରେ ଘୋଡ଼ାର ପାଦହୀନ ଦେହ ଓ ବେକ ଆକାରର ଗୋଟିଏ ଥାଟ ତିଆରି କରି ତା ଉପରେ ଲୁଗା ଆଦି ଘୋଡ଼ାନ୍ତି ଓ ବେକ ଉପରେ ଘୋଡ଼ାମୁହଁ ପରି ଚିତ୍ରିତ ମୁଖାଟିଏ ଲଗାନ୍ତି ଉକ୍ତ ଚଇତିଘୋଡ଼ାର ପିଠିରେ ଗୋଟିଏ କଣା ଥାଏ ସେହି କଣାବାଟେ ମନୁଷ୍ୟ ଅଣ୍ଟା ପର୍ଯ୍ୟନ୍ତ ପଶି କରି ଭୂମିରେ ଠିଆହୁଏ ଓ ଘୋଡ଼ାରୂପର ଆଗରୁ ଓ ପଛରୁ ଡ଼ୋରି ଲଟକା ଯାଏ ମନୁଷ୍ୟର ଅଣ୍ଟାଠାରୁ ନିମ୍ନ ଅଂଶ ଘୋଡ଼ା ଭିତରେ ଲୁଚି ଥାଏ ଓ ଅଣ୍ଟାଠାରୁ ଉପର ଅଂଶ ଘୋଡ଼ା ଭିତରେ ବସିବା ପରି ଅନୁମିତ ହୁଏ । ଏ ବ୍ୟକ୍ତି ନାଚିବା ସଙ୍ଗେ ସଙ୍ଗେ ଘୋଡ଼ା ମଧ୍ୟ ନାଚେ ଘୋଡ଼ାର ମୁହଁଆଡ଼େ ଲଗାମପରି କନାଡ଼ୋରି ବନ୍ଧା ହୋଇଥାଏ ଉକ୍ତ ଡ଼ୋରିକୁ ନାଚିବାବାଲା ଧରି ଘୋଡ଼ାର ଲଗାମ ଧରିବାର ଅଭିନୟ କରେ କେଉଟମାନେ ଏହି ପର୍ବ ଉପଲକ୍ଷରେ ଚଢ଼େଇବା ଓ ଚଢ଼ଉଣୀ ବେଶ ହୋଇ ନାଚନ୍ତି ଓ ଗୀତ ବୋଲନ୍ତି ।
ଚାର୍ଲ୍ସ ଜନ ହଫ୍ଫାମ ଡିକେନ୍ସ ( ୭ ଫେବୃଆରୀ ୧୮୧୨-୯ ଜୁନ ୧୮୭୦ ) ଜଣେ ଇଂରେଜୀ ଲେଖକ ଓ ସାମାଜିକ ସମାଲୋଚକ ଥିଲେ । ସେ ବିଶ୍ୱର କେତେକ ସର୍ବାଧିକ ଆଦୃତ କାଳ୍ପନିକ ଚରିତ୍ରର ସୃଷ୍ଟି କର୍ତା ଥିଲେ ଓ ଅନେକଙ୍କ ମତରେ ସେ ଭିକ୍ଟୋରିଆନ ଯୁଗର ସର୍ବଶ୍ରେଷ୍ଠ ଉପନ୍ୟାସକାର ଥିଲେ । ତାଙ୍କ ଉପନ୍ୟାସର ଚରିତ୍ର " ଅଲିଭର ଟୁଇସ୍ଟ "ଓ "ଡେଭିଡ କପରଫିଳ୍ଡ "ଭିକ୍ଟୋରିଆ ଯୁଗରୁ ଆରମ୍ଭ କରି ଆଜିଯାଏ ଏକ ଆଦରଣୀୟ ଔପନ୍ୟାସୀକ ଚରିତ୍ର ଭାବରେ ଆଦୃତ ହେଇ ଆସିଛି ।ଅଲିଭର ଜଣେ ଅପାଠୁଆ ଦରିଦ୍ର ବାଳକର ଚରିତ୍ର । ତାହାର ଚରିତ୍ର ଚିତ୍ରଣରେ ଡିକେନ୍ସ ଅତ୍ୟନ୍ତ ନିଖୁନତାର ସହ ଇଂଲଣ୍ଡର ସାଧାରଣ ଜନ ଜୀବନକୁ ଜୀବନ୍ତ ଭାବରେ ପ୍ରତିଫଳନ କରେଇ ଥିଲେ । ଡିକେନ୍ସ ନିଜ ଜୀବନ କାଳ ମଧ୍ୟରେ ସେ ବିରଳ ଜନପ୍ରିୟତା ହାସଲ କରିଥିଲେ ଓ ବିଂଶ ଶତାବ୍ଦୀ ବେଳକୁ ବିଦ୍ୱାନ ଓ ସମାଲୋଚକମାନେ ତାଙ୍କୁ ସାହିତ୍ୟିକ କିମ୍ବଦନ୍ତୀ ବ୍ୟକ୍ତି ଭାବରେ ଗ୍ରହଣ କରିଥିଲେ ।ଏବେ ମଧ୍ୟ ତାଙ୍କର ସାହିତ୍ୟିକ କୃତି ସବୁ ବିଶ୍ୱ ସାହିତ୍ୟରେ ଶ୍ରେଷ୍ଠ ଓ ବହୁଳ ବିକ୍ରୀତ ପୁସ୍ତକ ତାଲିକାରେ ରହିଛି । ଡିକେନ୍ସଙ୍କ ଜନ୍ମ ଇଂଲଣ୍ଡର ପୋର୍ଟ୍ସମାଉଥଠାରେ ହେଇଥିଲା । ତାଙ୍କର ଋଣଗ୍ରସ୍ତ ପିତାଙ୍କୁ ରୁଣ ସୁଝି ନ ପାରିବାରୁ ଜେଲ ଦଣ୍ଡ ମିଳିବାରୁ ବାଲ୍ୟ କାଳରୁ ସେ ସ୍କୁଲ ଛାଡି ଏକ କାରଖାନାରେ କାର୍ଯ୍ୟ କରିବାକୁ ହେଇଥିଲା । ସାଧାରଣ ବିଦ୍ୟାଳୟ ଶିକ୍ଷା କମ ପାଇଥିଲେ ମଧ୍ୟ ସେ ଏକ ସାପ୍ତାହିକି ଜର୍ନାଲ ୨୦ ବର୍ଷ ଧରି ସମ୍ପାଦନା କରିଥିଲେ ଓ ୧୫ଟି କାଳ୍ପନିକ ଉପନ୍ୟାସ ସହ ୫ଟି କ୍ଷୁଦ୍ର ଉପନ୍ୟାସ , ଶତାଧିକ କ୍ଷୁଦ୍ର ଗଳ୍ପ , ଅନେକ ଅଣ–କାଳ୍ପନିକ ଲେଖା ବଳି ରଚନା କରିବା ସହ ବ୍ୟାପକ ଭାବରେ ବକୃତା ଦେଇଥିଲେ । ସେ ନିରନ୍ତର ଭାବରେ ଜଣେ ପତ୍ର ଲେଖକ ଥିଲେ । ସାମାଜିକ କ୍ଷେତ୍ରରେ ଅବଦାନ ଭାବରେ ସେ ଶିଶୁ ମାନଙ୍କ ଶିକ୍ଷା , ସାମାଜିକ ଅଧିକାରର ଜଣେ ବଳିଷ୍ଟ ସମର୍ଥକ ଓ ଅଗ୍ରଦୂତ ଭାବରେ ରହିଥିଲେ । ଡିକେନ୍ସ 1836 ମସିହାରେ “ ଦି ପିକୱିକ ପେପର୍ସ “( The Pickwick Papers ) ନାମକ ଏକ ଧାରାବାହିକ ଲେଖା ପ୍ରକାଶ କରି ଦ୍ରୁଷ୍ଟି ଆକର୍ଷଣ କରିଥିଲେ । ମାତ୍ର କିଛି ବର୍ଷ ମଧ୍ୟରେ ସେ ତାଙ୍କର ଲେଖାରେ ସାମାଜିକ ଚରିତ୍ର ଗୁଡିକର ନିଖୁଣ ଚିତ୍ରଣ , ଲେଖାରେ ନାଟକୀୟତା ତଥା ସମାଜର ସାଂପ୍ରତିକ ଘଟଣା ବଳିର ଜୀବନ୍ତ ଭଙ୍ଗିରେ ଉପସ୍ଥାପନା ପାଇଁ ଅନ୍ତର୍ଜାତିକ ସ୍ତରରେ ପରିଚିତ ହେଇ ଗଲେ । ସେହି ସମୟରେ ତାଙ୍କର ଉପନ୍ୟାସ ମାସିକ ବା ସାପ୍ତାହିକ ପତ୍ରିକାରେ ଧାରାବାହିକ ହିସାବରେ ପ୍ରକାଶିତ ହଉଥିଲା ।ସମୟ କ୍ରମେ ଭିକ୍ଟୋରିଆ ଯୁଗରେ ଏହା ସବୁଠାରେ ପ୍ରଚଳିତ ପ୍ରକାଶନ ଧାରାରେ ପରିଣତ ହେଇଥିଲା । ତାଙ୍କର ଅନନ୍ୟ "ଧାରାବାହିକ ପ୍ରକାଶନ" ମଧ୍ୟମଦ୍ୱାରା ସେ ପାଠକ ମାନଙ୍କ ପ୍ରତିକ୍ରିୟା ଜାଣି ସେହି ଅନୁସାରେ ତାଙ୍କର ଆଗାମୀ ପର୍ଯ୍ୟାୟ ଲେଖାର କାହାଣୀକୁ ପରିବର୍ତନ କରୁଥିଲେ । ସେ ତାଙ୍କର ସର୍ବାଧିକ ଆଦୃତ ଉପନ୍ୟାସ “ ଦେଭିଡ କପରଫିଳ୍ଡ ‘ ( David Coppersfield )ରେ "ମିସ ମିକାୱର"ଙ୍କ ଚରିତ୍ର ଦୁର୍ବଳତାକୁ ପ୍ରତିଫଳନ କରୁଥିବାର ମତ ଜାଣିବା ପରେ ତାହାକୁ ପରବର୍ତୀ ଅଧ୍ୟାୟରେ ସକାରାତ୍ମକ ଚରିତ୍ରରେ ପରିବର୍ତନ କରିଥିଲେ । ସେ ସେହି ସମୟରେ ଇଂଲଣ୍ଡ ରାସ୍ତାରେ ବୁଲୁଥିବା ବା କାରଖାନାରେ ଶ୍ରମିକ ଥିବା ଅଶିକ୍ଷିତ ବାଳକ ମାନଙ୍କୁ ବସେଇ ତାଙ୍କୁ ମାସିକ ଧାରାବାହିକ ସବୁ ପଢି ଶୁଣାଉଥିଲେ ଓ ତାହାଦ୍ୱାରା ସେମାନେ ଏକ ନୂତନ ଶ୍ରେଣୀର ପାଠକ ହେଇ ଅଣପରମ୍ପରିକ ଶିକ୍ଷା ମଧ୍ୟ ପାଉଥିଲେ । . ତାଙ୍କ ସମୟରେ ଡିକେନ୍ସ ଜଣେ ପ୍ରବୃଦ୍ଧ ସାହିତ୍ୟିକ ଭାବରେ ଜଣା ଶୁଣା ହେଇ ସାରିଥିଲେ ଓ ୧୯୪୮ ମସିହାରେ ତାଙ୍କର ଉପନ୍ୟାସ “A Christmas Carol,” ବହୁ ପ୍ରଶଂଷିତ ହେବା ସହ ଅନେକ ନୂତନ ଲେଖକଙ୍କ ପାଇଁ ମାର୍ଗଦର୍ଶକ ହେଇଥିଲା । ତାଙ୍କର ଉପନ୍ୟାସ “Oliver Twist “ଓ “ Great Expectations” ଆଦୃତ ହେବା ସହ ଆଦର୍ଶ ମଧ୍ୟ ହେଇଥିଲା । ତାଙ୍କର ଲେଖା ସବୁକୁ ଭିକ୍କ୍ଟୋରିଆ ଯୁଗର ଉପୋନ୍ୟାସ ସାହିତ୍ୟର ଏକ ନିଦର୍ଶନ ଭାବରେ ନିଆଯାଇ ଆସୁଛି । ଲଣ୍ଡନ ଓ ପାରିସ ଦୁଇଟି ମୁଖ୍ୟ ଇଉରୋପୀୟ ମହାନଗରୀ ଉପରେ ପରଜ୍ଯବେଶିତ ଡିକେନ୍ସଙ୍କ ଉପନ୍ୟାସ “A Tale of Two Cities,”ରେ ସେ ଯୁଗର ଏକ ଶ୍ରେଷ୍ଠ ଏଇତିହାସିକ କାଳ୍ପନିକ ଉପନ୍ୟାସ ଭାବରେ ତାଙ୍କୁ ସ୍ୱୀକୃତି ଦେଇଥିଲା । ଡିକେନ୍ସଙ୍କ ଲେଖା ସମୂହକୁ ବିଶ୍ୱର ପ୍ରଖ୍ୟାତନାମା ଲେଖକ ଲିଓ ଟଲଷ୍ଟୟ, ଜର୍ଜ ଅରୱେଲ, ଓ ଜି. କେ.
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବିଶ୍ୱନାଥ ଦାଶ (୧୮୮୯ - ୧୯୮୪) ଜଣେ ଭାରତୀୟ-ଓଡ଼ିଆ ରାଜନେତା, ସମାଜସେବୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ବ୍ରିଟିଶ ଶାସନ (୧୯୩୭ - ୧୯୩୯) କାଳରେ ଓଡ଼ିଶା ପ୍ରଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଥିଲେ । ସେ ମଧ୍ୟ ଉତ୍ତର ପ୍ରଦେଶର ରାଜ୍ୟପାଳ (୧୯୬୨-୧୯୬୭) ଥିଲେ ଏବଂ ଶେଷରେ ଓଡ଼ିଶା ପ୍ରଦେଶର ମୁଖ୍ୟମନ୍ତ୍ରୀ (୧୯୭୧-୧୯୭୨) ଥିଲେ । ସେ ଲୋକ ସେବକ ମଣ୍ଡଳର ଆଜୀବନ ସଦସ୍ୟ ମଧ୍ୟ ଥିଲେ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲାହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ମହିଳା ଇତିହାସ ମାସ ଐତିହାସିକ ଓ ସମକାଳୀନ ସାମାଜିକ ଘଟଣା ପ୍ରତି ମହିଳାମାନଙ୍କ ଅବଦାନ ନିମନ୍ତେ ପାଳିତ ହେଉଥିବା ଏକ ଘୋଷିତ ବାର୍ଷିକ ମାସ । ମାର୍ଚ୍ଚ ୮ତାରିଖରେ ଆନ୍ତର୍ଜାତିକ ମହିଳା ଦିବସ ସହ ତାଳ ମିଳାଇ ଏହା ଯୁକ୍ତରାଷ୍ଟ୍ର ଆମେରିକା ଓ ଯୁକ୍ତରାଜ୍ୟ ଓ ଅଷ୍ଟ୍ରେଲିଆରେ ମାର୍ଚ୍ଚ ମାସରେ ପାଳିତ ହୋଇଥାଏ ଏବଂ ଅକ୍ଟୋବରରେ କାନାଡ଼ାରେ ଅକ୍ଟୋବର ୧୮ ପର୍ସନ୍ସ ଡେରେ ପାଳିତ ହୋଇଥାଏ ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୧୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଛାୟାପଥ (English: Galaxy), ମହାକର୍ଷଣ ଶକ୍ତିଦ୍ୱାରା ବନ୍ଧିତ ଅସଂଖ୍ୟ ତାରାପୁଞ୍ଜ, ତାରାଗୁଡ଼ିକର ଅବଶେଷ, ଅନ୍ତଷ୍ଟିଲାର ବାୟୁ (Interstellar gas), ଧୂଳି, ଅନ୍ଧାରୁଆ ପଦାର୍ଥ (Dark matter) ଗୁଡ଼ିକର ଏକ ସମୂହ ଅଟେ । ଆମେ ଅବସ୍ଥାନ କରୁଥିବା ଛାୟାପଥ, ଆକାଶଗଙ୍ଗା ସ୍ୱଚ୍ଛ ଓ ଅନ୍ଧାର ରାତିରେ ଆକାଶ ମଝିରେ ଗତିକରୁଥିବା ଅର୍ଦ୍ଧଚକ୍ର ରୂପେ ଏବଂ ଝିଲମିଲ କମରବନ୍ଧ ବା ବେଲ୍ଟ ସମାନ ଦେଖାଯାଇଥାଏ । ଏହି ବେଲ୍ଟ ଏକ ପୂର୍ଣ୍ଣଚକ୍ରର ଅଙ୍ଗ ଅଟେ, ଯାହାର ଦିଗବଳୟ ତଳ ଭାଗ ଦେଖାଯାଏ ନାହିଁ । ଭାରତରେ ଏହି ଛାୟାପଥକୁ ମନ୍ଦାକିନୀ, ସ୍ୱର୍ଣ୍ଣଗଙ୍ଗା, ସ୍ୱର୍ନଦୀ, ସୁରନଦୀ, ଆକାଶନଦୀ, ଦେବନଦୀ, ନାଗବୀଥୀ, ହରିତାଳୀ ଇତ୍ୟାଦି ମଧ୍ୟ କୁହାଯାଏ । ବ୍ରହ୍ମାଣ୍ଡର ଗୁରୁତ୍ୱାକର୍ଷଣ ବିରୋଧରେ, ଆକାଶଗଙ୍ଗା ସୌରଜଗତ ଏବଂ ଅନ୍ୟମାନଙ୍କୁ ଏକାସଙ୍ଗେ ରଖିଥାଏ । ପୃଥିବୀ ଓ ସୂର୍ଯ୍ୟ ଯେପରି ଛାୟାପଥରେ ଅବସ୍ଥିତ ଅଛନ୍ତି, ରାତିରେ ଆମ୍ଭେମାନେ ଖାଲି ଆଖିରେ ସେହି ଛାୟାପଥର ତାରାମାନଙ୍କୁ ଦେଖିପାରୁ । ଏବେ ପର୍ଯ୍ୟନ୍ତ ବ୍ରହ୍ମାଣ୍ଡର ଯେତିକି ଭାଗ ଜଣା ପଡ଼ିଛି ସେଥିମଧ୍ୟରୁ ପାଖାପାଖି ଏହିପରି ୧୯ ଆରବ ଛାୟାପଥ ରହିବାର ଅନୁମାନ ରହିଛି । ବ୍ରହ୍ମାଣ୍ଡର ବିସ୍ଫୋଟ ସିଦ୍ଧାନ୍ତ (ବିଗ ବଙ୍ଗ ଥିୟୋରୀ ଅଫ ୟୁନିଭର୍ସ) ଅନୁସାରେ ସମସ୍ତ ଛାୟାପଥ ନିଜ ନିଜଠାରୁ ତିବ୍ର ଭାବେ ଦୂରକୁ ନିଜ ସ୍ଥାନ ବଦଳାଇ ଦେଉଛି । ବ୍ରହ୍ମାଣ୍ଡରେ ଶହେ ଆରବ ଛାୟାପଥର ଅସ୍ତିତ୍ତ୍ୱ ରହିଛି , ଯାହା ବଡ଼ମାତ୍ରାରେ ତାରା, ଗ୍ୟାସ ଓ ଖଗୋଳୀୟ ଧୂଳିକୁ ସାଉଣ୍ଟି ରଖିଛି । ଛାୟାପଥଗୁଡ଼ିକ ନିଜ ଜୀବନ ଲକ୍ଷ ଲକ୍ଷ ବର୍ଷ ପୂର୍ବେ ପ୍ରାରମ୍ଭ କରିଥିଲେ ଏବଂ ଧିରେ ଧିରେ ନିଜର ବର୍ତ୍ତମାନ ସ୍ୱରୂପକୁ ପ୍ରାପ୍ତ କରିଥିଲା । ପ୍ରତ୍ୟେକ ଛାୟାପଥ ତାରା ମାନଙ୍କୁ ସାଉଣ୍ଟି ରଖିଛି । ଏହା ମୁଖ୍ୟତଃ ଗୁରୁତ୍ୱାକର୍ଷଣ ତାରାମାନଙ୍କୁ ଏକା ସହିତ ବାନ୍ଧି ରଖିଥାଏ ଏବଂ ଏହିପ୍ରକାରେ ସେମାନଙ୍କ ଛାୟାପଥ ଏକାସହିତ ମିଶି ତାରା ଗୁଚ୍ଛରେ ରହିଥାଏ । ପ୍ରାରମ୍ଭରେ ଖାଗୋଳିୟ ଶାସ୍ତ୍ରୀମାନଙ୍କ ଧାରଣା ଥିଲା ଯେ, ବ୍ରହ୍ମାଣ୍ଡରେ ନୂତନ ଛାୟାପଥର ଜନ୍ମ ସମ୍ଭବତଃ ପୁରୂଣା ଛାୟାପଥର ବିସ୍ଫୋଟର ଫଳସ୍ୱରୂପ ହୋଇଥାଏ । କିନ୍ତୁ ୟାର୍କ ବିଶ୍ୱବିଦ୍ୟାଳୟର ଖାଗୋଳିୟ ଶାସ୍ତ୍ରୀ- ଡଃ॰ସୀ.ଆର.
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ହରପ୍ପା ( Punjabi pronunciation: [ɦəɽəppaː] ; ଉର୍ଦ୍ଦୁ / Punjabi ) ପାକିସ୍ତାନର ପଞ୍ଜାବର ଏକ ପ୍ରତ୍ନତାତ୍ତ୍ୱିକ ସ୍ଥାନ, ସାହିୱାଲର ପ୍ରାୟ 24 km (15 mi) ପଶ୍ଚିମରେ ଏହି ସାଇଟ୍ ରବି ନଦୀର ପୂର୍ବ ପଥ ନିକଟରେ ଅବସ୍ଥିତ । ରବି ନଦୀ ନିକଟରେ ଅବସ୍ଥିତ ଏକ ଆଧୁନିକ ଗାଁରୁ ଏହାର ନାମକରଣ ହୋଇଛି । ରବି ନଦୀ ବର୍ତ୍ତମାନ 8 km (5.0 mi) ଉତ୍ତରରେ ଚାଲୁଛି । ହରପ୍ପାର ପ୍ରାଚୀନ ସ୍ଥାନଟି ବର୍ତ୍ତମାନର ହରପ୍ପା ଗାଁରୁ 1 km (0.62 mi)ରୁ କମ୍ ଦୂରରେ ଅବସ୍ଥିତ । ଯଦିଓ ଆଧୁନିକ ହରପ୍ପା ବ୍ରିଟିଶ ରାଜ ସମୟରୁ ଏକ ପୁରୁଣା ରେଳ ଷ୍ଟେସନ ଅଛି, ଏହା ଆଜି ୧୫,୦୦୦ ଲୋକଙ୍କ ଏକ ଛୋଟ ଛକ ସହର ଅଟେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଫ୍ରେଞ୍ଚ ଫ୍ରାଇଜ (ଉତ୍ତର ଆମେରିକା ଇଂରାଜୀ, କାନାଡ଼ା ଇଂରାଜୀ, ବ୍ରିଟିଶ ଇଂରାଜୀ "ଚିପ୍ସ" ଫ୍ରାଇଜ, ଫିଙ୍ଗର ଚିପ୍ସ ([[ଭାରତୀୟ ଇଂରାଜୀ), କିମ୍ବା ଫ୍ରେଞ୍ଚ ଫ୍ରାଇଜ ଆଳୁ ସଂଯୁକ୍ତ ରାଜ୍ୟ ଆମେରିକା ଏବଂ କାନାଡ଼ାର ଅଧିକାଂଶରେ ଶବ୍ଦ 'ଫ୍ରାଇଜ ଆଳୁକୁ ସିଝେଇ , ତେଲରେ ଛଣା ହୋଇ ଲମ୍ବା ଆକୃତିର ଖାଦ୍ୟକୁ ଦର୍ଶାଇଥାଏ , କିନ୍ତୁ ୟୁନଇଟେଡ଼ କିଙ୍ଗଡ଼ମ, ଅଷ୍ଟ୍ରେଲିଆ, ଦକ୍ଷିଣ ଆଫ୍ରିକା, ଅୟର୍ଲ୍ୟାଣ୍ଡ ଗଣରାଜ୍ୟ ଏବଂ ନ୍ୟୁଜଲ୍ୟାଣ୍ଡରେ ଏହି ଲମ୍ବା କଟା ଆଳୁରେ ପ୍ରସ୍ତୁତ ଫ୍ରାଇଜକୁ ଶୁଏଷ୍ଟିଙ୍ଗ ଫ୍ରାଇଜ କିମ୍ବା ସ୍କିନୀ ଫ୍ରାଇଜ ବୋଲି କୁହାଯାଏ । ଫ୍ରାନ୍ସରେ ଫ୍ରେଞ୍ଚ ଫ୍ରାଇଜକୁ ଫ୍ରାଇଟ୍ସ କିମ୍ବା ପୋମଜ ଫ୍ରାଇଟ୍ସ କୁହାଯାଏ, ଏହା ଏକ ଏପରି ନାମ ଅଟେ ଯାହାର ପ୍ରୟୋଗ ଅନେକ ଫ୍ରାନ୍ସ ଦେଶରେ ମଧ୍ୟ ବ୍ୟବହାର କରାଯାଏ ।ଅନ୍ୟ ସ୍ଥାନରେ ଏହି ନାମର ଅର୍ଥ ଫ୍ରାଇଡ଼ ପୋଟାଟୋଜ କିମ୍ବା ଫ୍ରେଞ୍ଚ ପୋଟାଟୋଜ ହୋଇଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଗୋପାଳବଲ୍ଲଭ ଦାସ (୨୩ ଡିସେମ୍ବର ୧୮୬୦ - ୧୯୧୪) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଏବଂ ବ୍ରିଟିଶ ଶାସନ ସମୟରେ ଓଡ଼ିଶା କମିଶନରଙ୍କର ସହାୟକ, ଡେପୁଟି ମାଜିଷ୍ଟେଟ ଓ ଗଡ଼ଜାତ ସମୂହର ସହାୟକ ସୁପୁରିଣ୍ଟେଣ୍ଡେଣ୍ଟ ଥିଲେ । ସେ ପ୍ରଧାନତଃ ଓଡ଼ିଆ ଉପନ୍ୟାସ, କବିତା ଓ ଅନୁବାଦ ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚିତ ଉପନ୍ୟାସ ଭୀମା ଭୂଇଁଆ ଥିଲା ଓଡ଼ିଆରେ ଲିଖିତ ପ୍ରଥମ ଜନଜାତି ଉପନ୍ୟାସ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଶ୍ରୀ ହରମନ୍ଦିର ସାହିବ (ବସ୍ତୁତ୍, "ଭଗବାନଙ୍କ ନିବାସ"), ଏହା ଗୋଲଡେନ ଟେମ୍ପଲ ନାମରେ ପ୍ରସିଦ୍ଧ ଏବଂ ପବିତ୍ର ଗୁରୁଦ୍ୱାରା ଦରବାର ସାହିବ ରୂପେ ପରିଚିତ । ଏହା ଶିଖ ଧର୍ମର ମହତ୍ୱପୁର୍ଣ ଧର୍ମସ୍ଥଳ ଅଟେ । ଓ ଭାରତର ପଞ୍ଜାବ ରାଜ୍ୟର ଅମୃତସର ସହରରେ ଉପସ୍ଥିତ । ଏହି ମନ୍ଦିର ମନୁଷ୍ୟଙ୍କ ହାତରେ ବନିଥିବା ଏକ ଜଳାଶୟ (ସରୋବର)ର ଚାରି ପାର୍ଶ୍ୱରେ ନିର୍ମିତ ଯାହା କି ଗୁରୁ ରାମ ଦାସଙ୍କଦ୍ୱାରା ୧୫୭୭ ମସିହାରେ ସମାପ୍ତ କରା ଯାଇଥିଲା । ୧୫୮୯ରେ ଶିଖ ଧର୍ମର ପଞ୍ଚମ ଗୁରୁ - ଗୁରୁ ଅର୍ଜନ, ଲାହୋରର ଏକ ମୁସଲିମ ପିର ସାଇ ମିଲନ ମୀରଙ୍କୁ ଅନୁରୋଧ କରି ଏହାର ନିୟ ପ୍ରସ୍ଥର ସ୍ଥାପନା କରିଥିଲେ. ୧୬୦୪ ମସିହାରେ ଗୁରୁ ଅର୍ଜନ ଆଦି ଗ୍ରଂଥର ଏକ ପ୍ରତିଲିପି ହରମନ୍ଦିର ସାହିବରେ ସ୍ଥାପନ କରିଥିଲେ, ଏହା ଅଥ ସଥ ତୀରଥ (ବସ୍ତୁତ୍ୱ. ''୬୮ ତୀର୍ଥଯାତ୍ରାର ମନ୍ଦିର'').
ମାଟିର ମଣିଷ, ୧୯୬୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବାବୁଲାଲ ଦୋଶୀ । ଏହି କଥାଚିତ୍ରଟି କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଉପନ୍ୟାସ "ମାଟିର ମଣିଷ" ଉପରେ ନିର୍ମାଣ କରାଯାଇଥିଲା । କାଳିନ୍ଦୀ ଚରଣ ଏହି ଉପନ୍ୟାସର ଚଳଚ୍ଚିତ୍ର ରୂପାନ୍ତରଣ ପାଇଁ ବାବୁଲାଲ ଦୋଶୀଙ୍କ ପାଖରେ ସର୍ତ୍ତ ରଖିଥିଲେ ଯେ, ସତ୍ୟଜିତ ରାୟ କିମ୍ବା ମୃଣାଳ ସେନ ଏହାର ନିର୍ଦ୍ଦେଶନା କରନ୍ତୁ । ସତ୍ୟଜିତ ରାୟଙ୍କ ସମୟ ଅଭାବରୁ, ବାବୁଲାଲ ମୃଣାଳ ସେନଙ୍କୁ ଏହାର ନିର୍ଦ୍ଦେଶନା ପାଇଁ ବାଛିଥିଲେ । ଗୋପାଳ ଛୋଟରାୟ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ଏହି ଚଳଚ୍ଚିତ୍ରଟି ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଭାବରେ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବମାନଙ୍କରେ ପ୍ରଦର୍ଶିତ ହେବାର ସୁଯୋଗ ପାଇଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭାରତୀୟ ଜନତା ପାର୍ଟି (ବିଜେପି) ଭାରତର ଶାସକ ରାଜନୈତିକ ଦଳ । ଏହା ଭାରତୀୟ ଜାତୀୟ କଂଗ୍ରେସ ସହିତ ଭାରତର ଦୁଇଟି ପ୍ରମୁଖ ରାଜନୈତିକ ଦଳ ମଧ୍ୟରୁ ଅନ୍ୟତମ । ୨୦୧୯ ସୁଦ୍ଧା ଏହା ଜାତୀୟ ସଂସଦ ତଥା ରାଜ୍ୟସଭାରେ ପ୍ରତିନିଧିତ୍ୱ ଦୃଷ୍ଟିରୁ ଦେଶର ସର୍ବବୃହତ ରାଜନୈତିକ ଦଳ ଏବଂ ପ୍ରାଥମିକ ସଦସ୍ୟତା ଦୃଷ୍ଟିରୁ ଏହା ବିଶ୍ୱର ସର୍ବବୃହତ ଦଳ । ବିଜେପି ଏକ ଦକ୍ଷିଣପନ୍ଥୀ ଦଳ ଏବଂ ଏହାର ନୀତି ଐତିହାସିକ ଭାବରେ ହିନ୍ଦୁ ଜାତୀୟତାବାଦୀ ସ୍ଥିତିକୁ ପ୍ରତିଫଳିତ କରିଛି । ଏହାଠାରୁ ବେଶୀ ପୁରୁଣା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ (ଆରଏସଏସ) ସହିତ ଏହାର ଘନିଷ୍ଠ ଆଦର୍ଶ ଏବଂ ସାଂଗଠନିକ ସମ୍ବନ୍ଧ ରହିଛି ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଅର୍ଚ୍ଚନା ନାୟକ (ଜନ୍ମ ୨୭ ଫେବୃଆରୀ ୧୯୬୬) ଭାରତର ୧୪ଶ ଲୋକ ସଭାର ଜଣେ ସଦସ୍ୟ । ସେ ବିଜୁ ଜନତା ଦଳ, ରାଜନୈତିକ ଦଳରୁ ଓଡ଼ିଶାର କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀକୁ ପ୍ରତିନିଧିତ୍ୱ କରନ୍ତି । ୨୦୦୯ ସାଧାରଣ ନିର୍ବାଚନ ପୂର୍ବରୁ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ । ସେହି ନିର୍ବାଚନରେ ସେ ଭୁବନେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଲଢିଥିଲେ । ୨୦୧୩ରେ ସେ ବିଜେପିରୁ ଇସ୍ତଫା ଦେଇଥିଲେ ।
କ୍ରିକେଟ ଏକ ଖେଳର ନାମ ଯାହା ବ୍ୟାଟ ଏବଂ ବଲକୁ ନେଇ ୧୧ଜଣ ବିଶିଷ୍ଟ ଦୁଇ ଦଳ ଏକ କ୍ରିକେଟ ପଡ଼ିଆରେ ଖେଳନ୍ତି ଓ ପ୍ରତି ଦଳରେ ୧୧ ଜଣ ଖେଳାଳୀଙ୍କୁ ନେଇ ଖେଳାଯାଇଥାଏ । ପଡ଼ିଆର ମଧ୍ୟ ଭାଗରେ ୨୨ଗଜ ବିଶିଷ୍ଟ ଏକ ଆୟତ୍ତାକାର କ୍ଷେତ୍ର ଥାଏ ଯାହାକୁ ପିଚ୍ କୁହାଯାଏ । ଏହାର ଦୁଇ ମୁଣ୍ଡରେ ତିନୋଟି କରି କାଠ ନିର୍ମିତ ବାଡ଼ି ପୋତା ଯାଇଥାଏ ଯାହାକୁ ଉଇକେଟ କହନ୍ତି ଯେଉଁଥିରେ ତିନୋଟି ସ୍ଟମ୍ପ ଥାଏ । ପ୍ରତି ଉଇକେଟ ଆଗରେ ଗୋଟିଏ କରି କ୍ରିଜ ଥାଏ । ଦୁଇ ଦଳ ମଧ୍ୟରୁ ଗୋଟିଏ ଦଳକୁ ବ୍ୟାଟିଙ୍ଗ ଦଳ ଓ ଅନ୍ୟଟିକୁ କ୍ଷେତ୍ରରକ୍ଷକ ଦଳ କୁହାଯାଏ । ଏଥିରେ ଗୋଟିଏ ଦଳ ପ୍ରଥମେ ବ୍ୟାଟିଂ କରି ଅଧିକରୁ ଅଧିକ ଦୌଡ(Run) ସ୍କୋର କରିବାକୁ ଚେଷ୍ଟା କରିବା ବେଳେ, ଦ୍ୱିତୀୟ ଦଳ ବୋଲିଂ ତଥା କ୍ଷେତ୍ରରକ୍ଷଣ (ଫିଲ୍ଡିଂ | Fielding) କରିଥାନ୍ତି । ବ୍ୟାଟିଂ କରୁଥିବା ଦଳର ସମସ୍ତ ଖେଳାଳୀ ଆଉଟ କିମ୍ବା ଏକ ନିର୍ଦ୍ଧାରିତ ଓଭରର ବୋଲିଂ ଶେଷ ହେବା ପରେ ଦ୍ୱିତୀୟ ଦଳ ବ୍ୟାଟିଂ କରି, ପ୍ରଥମ ଦଳ ସ୍କୋର କରିଥିବା ଦୌଡ (Run)କୁ ହାସିଲ କରିବାକୁ ଚେଷ୍ଟା କରିଥାନ୍ତି । ଖେଳର ପରିଣାମ ସର୍ବାଧିକ ଦୌଡ(Run) ଉପରେ ନିର୍ଭର କରିଥାଏ । ବର୍ତ୍ତମାନ ଭାରତର ସବୁଠାରୁ ଲୋକପ୍ରିୟ ଖେଳ ହେଲା କ୍ରିକେଟ । ବର୍ତ୍ତମାନ କ୍ରିକେଟ ତିନୋଟି ଫର୍ମାଟରେ ଖେଳା ଯାଊଛି, ଯଥା ଟେଷ୍ଟକ୍ରିକେଟ, ଏକ ଦିବସୀୟ ବା ୱନ୍ ଡେ କ୍ରିକେଟ ଏବଂ ଟ୍ୱେଣ୍ଟି ଟ୍ୱେଣ୍ଟି କ୍ରିକେଟ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ରାଧାନାଥ ରଥ (୮ ଫେବୃଆରୀ ୧୯୨୦ - ୨୯ ଅକ୍ଟୋବର ୨୦୧୪) ଓଡ଼ିଶାର ଜଣେ ମନସ୍ତତ୍ତ୍ୱବିଦ । ସେ ରେଭେନ୍ସା କଲେଜରେ ଅଧ୍ୟାପକଭାବେ ଚାକିରି ଜୀବନ ଆରମ୍ଭ କରିଥିଲେ । ତାଙ୍କ ଉଦ୍ୟମକ୍ରମେ ସେଠାରେ ମନସ୍ତତ୍ତ୍ୱ ବିଭାଗ ଓ ଉତ୍କଳ ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର ବିଭାଗ ଖୋଲାଯାଇଥିଲା । ୧୯୪୯ ମସିହାରେ ପ୍ରଥମ ଓଡ଼ିଆ ଭାବେ ସେ ଲଣ୍ଡନ ବିଶ୍ୱବିଦ୍ୟାଳୟରୁ ମନସ୍ତତ୍ତ୍ୱରେ ଡକ୍ଟରେଟ ଡିଗ୍ରୀ ଲାଭ କରିଥିଲେ । ୧୯୮୪ ମସିହାରେ ତାଙ୍କ ଉଦ୍ୟମରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଆନ୍ତର୍ଜାତୀୟ ମନସ୍ତତ୍ତ୍ୱବିତ ସମ୍ମିଳନୀ, ଭୁବନେଶ୍ୱର ଅନୁଷ୍ଠିତ ହୋଇଥିଲା । ସେ ବିଶ୍ୱବିଦ୍ୟାଳୟ ଆୟୋଗର ମନୋବିଜ୍ଞାନ ପ୍ୟାନେଲର ଅଧ୍ୟକ୍ଷ, ଚୟନ ଏବଂ ପରିଦର୍ଶନ କମିଟିର ସଦସ୍ୟ, ଆଇସିଏସଏସଆରର ସଦସ୍ୟ, ଏନ୍ସିଇଆରଟିର ସଭ୍ୟ, ଓଡ଼ିଶା ଚାଇଲଡ଼ କେୟାର ଅରଗାନାଇଜେସନର ଅଧ୍ୟକ୍ଷ ରୂପେ ଅବସ୍ଥାପିତ ଥିଲେ । ୨୦୧୪ ମସିହା ସେପ୍ଟେମ୍ବର ୨୯ ତାରିଖ ଦିନ ଭୁବନେଶ୍ୱରଠାରେ ତାଙ୍କର ଦେହାନ୍ତ ହୋଇଥିଲା ।
କଟକ, କଟକ ଜିଲ୍ଲାର ମୁଖ୍ୟାଳୟ ହେବା ସହିତ ଓଡ଼ିଶାର ଉପ-ରାଜଧାନୀ ତଥା ତତ୍ ସହିତ ରାଜ୍ୟର ସର୍ବପୁରାତନ ନଗର ମଧ୍ୟ । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ପାଖରେ ଭୁବନେଶ୍ୱର, ପୁରୀ ଓ କୋଣାର୍କର ଅଛି । ୧୯୬୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।