ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷାର ସାମୁହିକ ବ୍ୟବହାର ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ଓଡ଼ିଆ ଭାଷା ଆନ୍ଦୋଳନ ନାମରେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ହିଙ୍ଗୁଳା ମନ୍ଦିର ( ହିଙ୍ଗୁଳା ପୀଠ) ତାଳଚେର ଗଡ଼ର ଗୋପାଳପ୍ରସାଦ ଗ୍ରାମରେ ଅବସ୍ଥିତ । ଏହି ଅଗ୍ନୀରୂପା ମା’ ପରମ ବୈଷ୍ଣବୀ ନାରାୟଣୀ ଶୁମ୍ଭ ନିଶୁମ୍ବଙ୍କୁ ବଧ କରି ସୁବଳ ଓ ଦୁନ୍ଦୁଭିଙ୍କୁ ମାରିବାକୁ ଗଲାବେଳେ ତାଙ୍କ ସହ ଅଷ୍ଟ ମହାବିଦ୍ୟା ଯାଇଥିଲେ । ସେହି ଅଷ୍ଟମହାବିଦ୍ୟାଙ୍କ ମଧ୍ୟରେ ମା ହିଙ୍ଗୁଳା ଅନ୍ୟତମ । ତାଳଚେରସ୍ଥ ଏହି ପ୍ରସିଦ୍ଧ ହିଙ୍ଗୁଳାଙ୍କ ସମ୍ପର୍କରେ ଜନଶ୍ରୁତିରୁ ଜଣାଯାଏ ଯେ, ଏଠାରେ ପ୍ରବାହିତ ସିଙ୍ଗଡା ନଦୀରେ ଅକସ୍ମାତ ଜ୍ୱାଳାମୁଖୀ ଅଗ୍ନିଙ୍କର ଆବିର୍ଭାବ ଘଟିଲେ ହିଙ୍ଗୁଳାଙ୍କ ଅଧିଷ୍ଠାନ କରାଯାଉଥିଲା ଏବଂ କାଳକ୍ରମେ ଚୈତ୍ର ଶୁକ୍ଳ ଚତୁର୍ଦ୍ଦଶୀରେ ଅଗ୍ନିଜ୍ୱାଳା ରୂପେ ପୂଜାତା ହିଙ୍ଗୁଳାଙ୍କ ଯାତ୍ରା ଅନୁଷ୍ଠିତ ହେବାରେ ଲାଗିଲା । କ୍ରମେ ଏହା ହିଙ୍ଗୁଳାପୀଠକୁ ରୂପାନ୍ତରିତ ହେଇଥିଲା ।
ନାରାୟଣ ବୀରବର ସାମନ୍ତ (୨୧ ଅକ୍ଟୋବର ୧୯୦୦ - ୯ ଅପ୍ରେଲ ୧୯୯୯), ଜନ୍ମନାମ ମିହିର ଜଗଦ୍ଦେବ, ଓଡ଼ିଶାରେ କୁଜଙ୍ଗ ଗାନ୍ଧୀ ନାମରେ ପରିଚିତ ଓ ସ୍ଥାନୀୟ ଅଞ୍ଚଳରେ ସାଆନ୍ତେ ବୋଲି ଡକା, ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ଦୁଇ ଥର କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୪୬ର ଓଡ଼ିଶା ବିଧାନ ସଭା ନିର୍ବାଚନ ନିର୍ବାଚନରେ ସେ ପୂର୍ବ କଟକ ସଦର ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଏରସମା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ରାଜନେତା ରତ୍ନମାଳୀ ଜେମା ତାଙ୍କର ଜୀବନସାଥୀ, ଓଡ଼ିଆ ଅଧ୍ୟାପିକା ଓ ଲେଖିକା ପ୍ରତିଜ୍ଞା ଦେବୀ ତାଙ୍କ ଝିଅ ଓ ସାହିତ୍ୟିକ ମନୋଜ ଦାସ ତାଙ୍କର ଜ୍ୱାଇଁ ଥିଲେ ।
ହରିହର ମିଶ୍ର (୧୯ ନଭେମ୍ବର ୧୯୪୦ - ୨୩ ସେପ୍ଟେମ୍ବର ୨୦୨୪) ଜଣେ ଓଡ଼ିଆ କବି, ଗାଳ୍ପିକ, ଅନୁବାଦକ ଓ ନାଟ୍ୟକାର ଥିଲେ । ବୃତ୍ତିରେ ସେ ଥିଲେ ଜଣେ ଅଧ୍ୟାପକ । ସେ ସାହିତ୍ୟ ସର୍ଜନା ସହିତ ସେ ବେତାର ନାଟକରେ ମଧ୍ୟ ଅଭିନୟ କରିଛନ୍ତି । ୨୦୧୬ମସିହାରେ, ସେ ଓଡ଼ିଶା ସାହିତ୍ୟ ଏକାଡେମିର ୩୧ତମ ସଭାପତି ଭାବରେ ନିଯୁକ୍ତ ହୋଇଥିଲେ । । ୧୯୭୦/୮୦ ଦଶକରେ ଓଡ଼ିଆ ସାହିତ୍ୟରେ ପ୍ରଭାବ ବିସ୍ଥାର କରିଥିବା ଅନାମ କବିତା ଆନ୍ଦୋଳନରେ ସେ ସଂଶ୍ଳିଷ୍ଠ ଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଚୈତ୍ର ପୂର୍ଣ୍ଣିମା (ଚଇତିପୁନେଇଁ ଓ ଚଇତ ପୁନେଇଁ ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ଗଣପର୍ବ । ଏହା କେଉଟ ଜାତିର ଲୋକଙ୍କଦ୍ୱାରା ଚୈତ୍ର ମାସ ପୂର୍ଣ୍ଣମୀ ତିଥିରେ (ମାର୍ଚ୍ଚ-ଅପ୍ରେଲ ଭିତରେ) ପାଳିତ ହୋଇଥାଏ । କେଉଟମାନେ ଘୋଡ଼ାର ଏକ ଖୋଳ କରି ସେଥିରେ ପଶି ଘୋଡ଼ା ଚଢ଼ିବାର ଅଭିନୟ କରିଥାନ୍ତି । ଏହା ଚଇତିଘୋଡ଼ା ନାଚ ନାମରେ ଜଣା । ପୂର୍ଣ୍ଣମୀର ପୂର୍ବ ଆଠ ଦିନ ଧରି "ଚଇତି ପର୍ବ" ପାଳନ କରାଯାଏ । ଆଦିବାସୀମାନେ ଏହି ପର୍ବରେ ଦିନ ରାତି ବ୍ୟାପୀ ଭୋଜିଭାତ, ନାଚ, ଶିକାର ଆଦି କରିଥାନ୍ତି । ଘରର ମୁଖ୍ୟ ଏହିଦିନ ପୂର୍ବପୁରୁଷମାନଙ୍କୁ ଶ୍ରାଦ୍ଧ ଦେଇଥାନ୍ତି । ଘରର ପ୍ରତ୍ୟେକ ସଦସ୍ୟ ନୂତନ ବସ୍ତ୍ର ପରିଧାନ ପୂର୍ବକ ଏଥିରେ ଅଂଶଗ୍ରହଣ କରିଥାନ୍ତି । ଏହି ଦିନ ପଶୁବଳି ଦେବା ବିଧି ମଧ୍ୟ କିଛି ସମ୍ପ୍ରଦାୟରେ ରହିଛି । ବର୍ଷର ପ୍ରଥମ ପାଚିଲା ଆମ୍ବ ଲୋକେ ଏଇ ଦିନ ଖାଇଥାନ୍ତି । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦଣ୍ଡ ନାଚ ଓ "ଚଇତିଘୋଡ଼ା ନାଚ" ଅନୁଷ୍ଠିତ ହୋଇଥାଏ । ଏହା ଉଭୟ ଆଦିବାସୀ ଓ ଅଣଆଦିବାସୀମାନେ ପାଳିଥାନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ହନୁମାନ ଜୟନ୍ତୀ ଏକ ହିନ୍ଦୁ ଧାର୍ମିକ ପର୍ବ । ଏହି ଦିନ ମୁଖ୍ୟତଃ ଭାରତ ଏବଂ ନେପାଳରେ ହିନ୍ଦୁ ଧର୍ମାବଲମ୍ବୀଙ୍କଦ୍ୱାରା ପୂଜିତ ହିନ୍ଦୁ ଭଗବାନ, ହନୁମାନଙ୍କ ଜନ୍ମ ଉତ୍ସବ ପାଳନ କରାଯାଏ । ଏହି ପର୍ବ ଭାରତର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଦିନରେ ପାଳନ କରାଯାଏ । ଭାରତର ଅଧିକାଂଶ ରାଜ୍ୟରେ ଚୈତ୍ର ପୂର୍ଣ୍ଣମୀରେ କିମ୍ବା ବୈଶାଖ ମାସରେ ଏହି ପର୍ବ ପାଳନ କରାଯାଏ କିମ୍ବା କିଛି ରାଜ୍ୟ ଯଥା କେରଳ ଏବଂ ତାମିଲନାଡୁରେ ଏହା ଅନ୍ୟ ସମୟରେ (ଧନୁ ମାସରେ) ପାଳିତ ହୁଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମାନସିକ କଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଗୌରୀଶଙ୍କର ରାୟ ଜଣେ ଓଡ଼ିଆ ଭାଷା ଆନ୍ଦୋଳନକାରୀ, ଲେଖକ ଓ ପ୍ରକାଶକ । ସେ ଉନବିଂଶ ଶତାବ୍ଦୀ ଓଡ଼ିଆ ନବଜାଗରଣର ପୁରୋଧା । ଗୌରୀଶଙ୍କର ଓଡ଼ିଶାବାସୀ ବଙ୍ଗାଳୀ ଓ ଉତ୍କଳ ସାହିତ୍ୟ ସମାଜର ସଭାପତି ଏବଂ ‘ଉତ୍କଳ ସଭା’ର ସମ୍ପାଦକ-ପରିଚାଳକ ହୋଇ ଓଡ଼ିଆ ଭାଷା ଆନ୍ଦୋଳନରେ ଭାଗନେଇଥିଲେ । ତାଙ୍କର ସମ୍ପାଦନାରେ ପ୍ରଥମ ଓଡ଼ିଆ ପତ୍ରିକା ଉତ୍କଳ ଦୀପିକା ପ୍ରକାଶିତ ହୋଇ ଓଡ଼ିଆମାନଙ୍କ ସ୍ୱାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦାବି ଉପସ୍ଥାପିତ କରିବାର ଭୂମିକା ଗ୍ରହଣ କରିଥିଲା । ସେ କଟକ ଟାଉନ ହଲର ପ୍ରତିଷ୍ଠାତା ଥିଲେ ।
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ୱୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲା ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଶିଶୁ କନ୍ୟାକୁ ବଞ୍ଚାଅ, ଝିଅକୁ ପଢ଼ାଅ (Beti Bachao, Beti Padhao)(BBBP) ଭାରତ ସରକାରଙ୍କ ଏକ ଯୋଜନା ଯାହାର ଲକ୍ଷ୍ୟ ହେଉଛି ଶିଶୁ କନ୍ୟାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି, ମହିଳାଙ୍କ କାର୍ଯ୍ୟଦକ୍ଷତା ଏବଂ ସାମଗ୍ରିକ ଅଭିବୃଦ୍ଧି । ନରେନ୍ଦ୍ର ମୋଦୀ ୨୨ ଜାନୁଆରୀ ୨୦୧୫ରେ ହରିଆଣାର ପାନିପଥଠାରେ ଏହି ଯୋଜନାର ଉଦ୍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମର ପ୍ରାରମ୍ଭିକ କର୍ପସ ପାଣ୍ଠି ହେଉଛି ୧୦୦ କୋଟି ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।