ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ହନୁମାନ ଜୟନ୍ତୀ ଏକ ହିନ୍ଦୁ ଧାର୍ମିକ ପର୍ବ । ଏହି ଦିନ ମୁଖ୍ୟତଃ ଭାରତ ଏବଂ ନେପାଳରେ ହିନ୍ଦୁ ଧର୍ମାବଲମ୍ବୀଙ୍କଦ୍ୱାରା ପୂଜିତ ହିନ୍ଦୁ ଭଗବାନ, ହନୁମାନଙ୍କ ଜନ୍ମ ଉତ୍ସବ ପାଳନ କରାଯାଏ । ଏହି ପର୍ବ ଭାରତର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଦିନରେ ପାଳନ କରାଯାଏ । ଭାରତର ଅଧିକାଂଶ ରାଜ୍ୟରେ ଚୈତ୍ର ପୂର୍ଣ୍ଣମୀରେ କିମ୍ବା ବୈଶାଖ ମାସରେ ଏହି ପର୍ବ ପାଳନ କରାଯାଏ କିମ୍ବା କିଛି ରାଜ୍ୟ ଯଥା କେରଳ ଏବଂ ତାମିଲନାଡୁରେ ଏହା ଅନ୍ୟ ସମୟରେ (ଧନୁ ମାସରେ) ପାଳିତ ହୁଏ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ସଙ୍ଗୀତ ନାରାୟଣ ହେଉଛି ୧୭ଶତାବ୍ଦୀର ଏକ ସଙ୍ଗୀତ ବିଷୟକ ଗ୍ରନ୍ଥ, ଯାହା ଓଡ଼ିଶୀ ସଙ୍ଗୀତ (ଭାରତର ଏକ ପାରମ୍ପରିକ ଶାସ୍ତ୍ରୀୟ ସଙ୍ଗୀତ ଶୈଳୀ) ପ୍ରଥା ସହ ସଂପୃକ୍ତ। ଏହା ସଙ୍ଗୀତ ଶିଳ୍ପୀ କବିରତ୍ନ ପୁରୁଷୋତ୍ତମ ମିଶ୍ରଙ୍କ ଦ୍ୱାରା ରଚିତ ଓ ପାରଳାଖେମୁଣ୍ଡିର ଗଜପତି ସର୍ବଜ୍ଞ ଜଗନ୍ନାଥ ନାରାୟଣ ଦେବଙ୍କ ନାମରେ ଅର୍ପିତ। ଏହା ଓଡ଼ିଶାରୁ ମିଳିଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସଙ୍ଗୀତ ଗ୍ରନ୍ଥଗୁଡ଼ିକ ମଧ୍ୟରୁ ଗୋଟିଏ ଓ ଓଡ଼ିଶୀ ସଙ୍ଗୀତରେ ଏ ପର୍ଯ୍ୟନ୍ତ ମୂଳ ଗ୍ରନ୍ଥ ଭାବେ ପାଳନ କରାଯାଉଛି। ଏହି ଗ୍ରନ୍ଥ ପ୍ରଥମେ ୧୯୬୬ ମସିହାରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ପ୍ରକାଶିତ ହୋଇଥିଲା, ଏବଂ ୨୦୦୯ ମସିହାରେ ଇନ୍ଦିରା ଗାନ୍ଧୀ ଜାତୀୟ କଳା କେନ୍ଦ୍ର ଦ୍ୱାରା ଏହାର ଏକ ଗଭୀର ସମୀକ୍ଷା ଆଧାରିତ ସଂସ୍କରଣ ପ୍ରକାଶିତ ହୋଇଥିଲା। ଏହି ଗ୍ରନ୍ଥର ପାଣିପଥିଗୁଡ଼ିକ ଭାରତର ବିଭିନ୍ନ ସ୍ଥାନରେ ମିଳିଥିବାରୁ, ଏହାର ଜାତୀୟ ସ୍ତରରେ ପ୍ରସାର ସୂଚିତ ହୋଇଥିଲା । ୧୯୮୭ ମସିହାରେ ଜୋନାଥନ କ୍ୟାଟ୍ଜ ତାଙ୍କ D. Phil.
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଚୈତ୍ର ପୂର୍ଣ୍ଣିମା (ଚଇତିପୁନେଇଁ ଓ ଚଇତ ପୁନେଇଁ ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ଗଣପର୍ବ । ଏହା କେଉଟ ଜାତିର ଲୋକଙ୍କଦ୍ୱାରା ଚୈତ୍ର ମାସ ପୂର୍ଣ୍ଣମୀ ତିଥିରେ (ମାର୍ଚ୍ଚ-ଅପ୍ରେଲ ଭିତରେ) ପାଳିତ ହୋଇଥାଏ । କେଉଟମାନେ ଘୋଡ଼ାର ଏକ ଖୋଳ କରି ସେଥିରେ ପଶି ଘୋଡ଼ା ଚଢ଼ିବାର ଅଭିନୟ କରିଥାନ୍ତି । ଏହା ଚଇତିଘୋଡ଼ା ନାଚ ନାମରେ ଜଣା । ପୂର୍ଣ୍ଣମୀର ପୂର୍ବ ଆଠ ଦିନ ଧରି "ଚଇତି ପର୍ବ" ପାଳନ କରାଯାଏ । ଆଦିବାସୀମାନେ ଏହି ପର୍ବରେ ଦିନ ରାତି ବ୍ୟାପୀ ଭୋଜିଭାତ, ନାଚ, ଶିକାର ଆଦି କରିଥାନ୍ତି । ଘରର ମୁଖ୍ୟ ଏହିଦିନ ପୂର୍ବପୁରୁଷମାନଙ୍କୁ ଶ୍ରାଦ୍ଧ ଦେଇଥାନ୍ତି । ଘରର ପ୍ରତ୍ୟେକ ସଦସ୍ୟ ନୂତନ ବସ୍ତ୍ର ପରିଧାନ ପୂର୍ବକ ଏଥିରେ ଅଂଶଗ୍ରହଣ କରିଥାନ୍ତି । ଏହି ଦିନ ପଶୁବଳି ଦେବା ବିଧି ମଧ୍ୟ କିଛି ସମ୍ପ୍ରଦାୟରେ ରହିଛି । ବର୍ଷର ପ୍ରଥମ ପାଚିଲା ଆମ୍ବ ଲୋକେ ଏଇ ଦିନ ଖାଇଥାନ୍ତି । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦଣ୍ଡ ନାଚ ଓ "ଚଇତିଘୋଡ଼ା ନାଚ" ଅନୁଷ୍ଠିତ ହୋଇଥାଏ । ଏହା ଉଭୟ ଆଦିବାସୀ ଓ ଅଣଆଦିବାସୀମାନେ ପାଳିଥାନ୍ତି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ଆତ୍ମହତ୍ୟାର ଏହାର ଅର୍ଥ ସ୍ୱେଚ୍ଛାରେ ନିଜକୁ ହତ୍ୟା କରିବା ଓ ଏହାକୁ ସୁଇସାଇଡ (ଇଂରାଜୀ ଭାଷାରେ suicide) ମଧ୍ୟ କୁହାଯାଏ ।. ଏହାର ସଙ୍କଟ ଜନକ ଅବସ୍ଥାମାନଙ୍କ ନାମ ମାନସିକ ବେମାରୀ ଅବସାଦ, ସିଜୋଫ୍ରେନିଆ, ମଦ୍ୟାତ୍ୟୟ, ନିଶା ଦ୍ରବ୍ୟ ସେବନ, ବାଇପୋଲାର ଡିଜଅଡର ଇତ୍ୟାଦି । ଅନ୍ୟ କାରକମାନଙ୍କ ନାମ ଚାପ ଜନିତ ଆବେଗ ଯାହା ଅର୍ଥନୈତିକ ସମସ୍ୟା, ସମ୍ପର୍କ ସମସ୍ୟା ବା ଭୟ । ପୂର୍ବରୁ ଆତ୍ମହତ୍ୟା ଚେଷ୍ଟା ଥିଲେ ଭବିଷ୍ୟତ ସଙ୍କଟ ଅଧିକ ରହେ । ବର୍ଡର ଲାଇନ ପର୍ସନାଲିଟି ଡିଜ୍ଅର୍ଡର ଓ ମ୍ୟାନିକ୍ ଡିପ୍ରେସନ ଯୋଗୁ ହତାଶା ହୁଏ ଓ ଏହାଦ୍ୱାରା ଆତ୍ମହତ୍ୟା ହୁଏ । ଆତ୍ମହତ୍ୟା ପ୍ରତିରୋଧ ନିମନ୍ତେ ଆଗ୍ନେୟାସ୍ତ୍ର ଓ ବିଷ ଅପହଞ୍ଚ, ମାନସିକ ବେମାରୀର ଚିକିତ୍ସା, ଡ୍ରଗ ଅପବ୍ୟବହାର, ଅର୍ଥନୀତିରେ ସୁଧାର ଓ ମିଡିଆ ରିପୋର୍ଟ ଅତି ଆବଶ୍ୟକ । ସାଧାରଣତଃ କ୍ରାଇସିସ୍ ହଟ୍ ଲାଇନ (ଫୋନ୍ ଯୋଗେ ପରାମର୍ଶ) ବ୍ୟବହାର କରାଯାଉଥିଲେ ମଧ୍ୟ ଏହାର କାର୍ଯ୍ୟକାରୀତା ବିଷୟରେ ପ୍ରମାଣ ବିଶେଷ ନାହିଁ । ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପ୍ରକାର ଆତ୍ମହତ୍ୟା ଦେଖାଯାଏ । ସାଧାରଣତଃ ବେକ ଝୁଲେଇବା (Hanging), ପୋକମରା ଔଷଧ ସେବନ ଓ ଆଗ୍ନେୟାସ୍ତ୍ରଦ୍ୱାରା ଏହା ସମ୍ଭବ ହୁଏ । ପ୍ରତିବର୍ଷ ପ୍ରାୟ ୮୦୦,୦୦୦ରୁ ଏକ ନିୟୁତ ଲୋକ ଏହି ଭାବରେ ମରନ୍ତି ଓ ଏହା ପୃଥିବୀରେ ମୃତ୍ୟୁର ଦଶମ କାରଣ ରୂପେ ପରିଚିତ । ପୁରୁଷ ଆତ୍ମହତ୍ୟା ସଂଖ୍ୟା ମହିଳାଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ । ସନ ୧୯୯୦ରେ ୭୧୨,୦୦୦ ଆତ୍ମହତ୍ୟା ମୃତ୍ୟୁ ହୋଇଥବା ବେଳେ ୨୦୧୩ରେ ୮୪୨,୦୦୦ ମୃତ୍ୟୁ ହୋଇଥିଲା । ୧୦ରୁ ୨୦ ନିୟୁତ ଆତ୍ମଘାତୀ ଚେଷ୍ଟା ପ୍ରତି ବର୍ଷ ହୁଏ ଯାହା ଫଳପ୍ରଦ ହୋଇପାରି ନ ଥାଏ । ଯୁବକମାନେ ମହିଳାମାନଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ ଆତ୍ମହତ୍ୟା ଚେଷ୍ଟା କରନ୍ତି । ଅଣ-ମାରାତ୍ମକ ଆତ୍ମହତ୍ୟା ପ୍ରଚେଷ୍ଟଦ୍ୱାରା ଆଘାତ ଓ ଦୀର୍ଘସ୍ଥାୟୀ ଅକ୍ଷମତା ଦେଖାଯାଏ । ୧୫-୨୯ ବର୍ଷ ବୟସ୍କଙ୍କ ମଧ୍ୟରେ ଆତ୍ମହତ୍ୟା ହିଁ ମୃତ୍ୟୁର ଦ୍ୱିତୀୟ ବଡ଼ କାରଣ ବୋଲି ମଙ୍ଗଳବାର, ୧୧ ସେପ୍ଟେମ୍ବର ୨୦୧୮ ମିଳିତ ଜାତିସଂଘ ନିଜର ଏକ ରିପୋର୍ଟରେ ଉଲ୍ଲେଖ କରିଥିଲା। ଲାନ୍ସେଟ୍ ପବ୍ଲିକ୍ ହେଲ୍ଥ ଜର୍ନାଲ୍ରେ ‘ଦି ଗ୍ଲୋବାଲ୍ ବର୍ଡନ୍ ଅଫ୍ ଡିଜିଜ୍ ଷ୍ଟଡିଜ୍ ୧୯୯୦-୨୦୧୬’ ଶୀଷର୍କରେ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି ଯେ, ବିଶ୍ୱବ୍ୟାପୀ ଘଟୁଥିବା ଆତ୍ମହତ୍ୟାର ୩୭% ପୁରୁଷ କେବଳ ଭାରତୀୟ ଏବଂ ୨୪% ମହିଳା ଚରମ ପଦକ୍ଷେପ ନେଇଥାନ୍ତି । ୧୫-୩୯ ବର୍ଷ ବୟସ୍କଙ୍କ ଆତ୍ମହତ୍ୟାରେ ଭାରତ ବିଶ୍ୱସ୍ତରରେ ତୃତୀୟ । ୧୯୯୦ରୁ ୨୦୧୬ ମଧ୍ୟରେ ଦେଶରେ ଆତ୍ମହତ୍ୟା ଜନିତ ମୃତ୍ୟୁସଂଖ୍ୟା ୪୦% ବଢ଼ିଛି । କେବଳ ୨୦୧୬ରେ ଭାରତରେ ୨,୩୦,୩୧୪ ଲୋକ ଆତ୍ମହତ୍ୟା କରିଛନ୍ତି । କର୍ନାଟକ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ ଏବଂ ତ୍ରିପୁରାରେ ଉଭୟ ପୁରୁଷ ଏବଂ ମହିଳାଙ୍କ କ୍ଷେତ୍ରରେ ଆତ୍ମହତ୍ୟା ହାର ସବୁଠାରୁ ଅଧିକ । କେରଳ, ଛତିଶଗଡ଼ରେ ଅଧିକ ପୁରୁଷ ଆମହତ୍ୟା କରିଥାନ୍ତି । ଭାରତରେ ପ୍ରତି ୧ଲକ୍ଷରେ ୧୫% ମହିଳା ଆତ୍ମହତ୍ୟା କରିଥାନ୍ତି। କେତେକ ଚିନ୍ତାଧାରା ଆତ୍ମହତ୍ୟା ପ୍ରରୋଚନା କରେ ଯଥା: ସମ୍ମାନ (Honour), ଧର୍ମ ଓ ଜୀବନର ମୂଲ୍ୟବୋଧ । ଆବ୍ରାହମ ଧର୍ମ ଅନୁଯାୟୀ ଜୀବନ ପବିତ୍ର, ତେଣୁ ଏହାକୁ ତ୍ୟାଗ କରିବା ପ୍ରଭୁଙ୍କ ପ୍ରତି ଅପରାଧ କରିବା ସଙ୍ଗେ ସମାନ । ଜାପାନର ସମୁରାଇ ଯୁଗରେ ଏହା (ସେପୁକୁ ବା ଆତ୍ମହତ୍ୟା) ଭୁଲର ପ୍ରାୟଶ୍ଚିତ କିମ୍ବା ପ୍ରତିବାଦ ରୁପେ ଗଣା ହେଉଥିଲା ।. ଆଇନ ବହିର୍ଭୂତ ସତୀ ଦାହ ପ୍ରଥାରେ ବିଧବାମାନେ ସ୍ୱଇଛାରେ ବା ପରିବାରର ପ୍ରରୋଚନାରେ ନିଜକୁ ଚିତାରେ ବିସର୍ଜନ କରୁଥିଲେ ।ପଶ୍ଚିମ ଦେଶମାନଙ୍କରେ ଆଗେ ଆତ୍ମହତ୍ୟା ଚେଷ୍ଟା ଦଣ୍ଡନୀୟ ଅପରାଧ ଥିଲା କିନ୍ତୁ ଏବେ ଅଧିକାଂଶ ଦେଶରେ ତାହା ନାହିଁ ।.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୀତା ପ୍ରକାଶ (IAST: Gītaprakāśa; ଅର୍ଥ: "ସଙ୍ଗୀତର ଆଲୋକ") ହେଉଛି ୧୬ଶ. ଶତାବ୍ଦୀର ଏକ ସଙ୍ଗୀତ ସମ୍ବନ୍ଧୀୟ ଗ୍ରନ୍ଥ, ଯାହା ଓଡ଼ିଶାର ପ୍ରାଚୀନ ଓଡ଼ିଶୀ ସଙ୍ଗୀତ ପରମ୍ପରାରେ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଅଧିକାର କରିଛି। ଏହାକୁ ସଙ୍ଗୀତଶାସ୍ତ୍ରୀ କୃଷ୍ଣଦାସ ବଡ଼ଜେନା ମହାପାତ୍ର ଲେଖିଥିଲେ, ଯିଏ ଗଜପତି ମୁକୁନ୍ଦଦେବଙ୍କ ରାଜଦରବାରର ଗାୟକ ଥିଲେ। ଏହା ଓଡ଼ିଶାରୁ ମିଳିଥିବା ଦ୍ୱିତୀୟ ପ୍ରାଚୀନତମ ସଙ୍ଗୀତ ଗ୍ରନ୍ଥ ଅଟେ । ଗୀତା ପ୍ରକାଶ ଓଡ଼ିଶୀ ସଙ୍ଗୀତ ପରମ୍ପରାର ଏକ ମୌଳିକ ଆଧାର ଭାବେ ପରିଚିତ ଓ ପରବର୍ତ୍ତୀ ବହୁ ସଙ୍ଗୀତଗ୍ରନ୍ଥ ଯଥା ସଙ୍ଗୀତ ନାରାୟଣ ଓ ସଙ୍ଗୀତ ମୁକ୍ତାବଳୀ ଏହି ଗ୍ରନ୍ଥକୁ ବ୍ୟାପକ ଭାବରେ ଉଦ୍ଧୃତ କରିଛନ୍ତି। ଏହି ସଙ୍ଗୀତ ଗ୍ରନ୍ଥଟି ପ୍ରଥମେ ୧୯୮୩ ମସିହାରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ପ୍ରକାଶିତ ହୋଇଥିଲା। ଏହାର ଆଧାର ହେଉଛି ଦୁଇଟି ତାଳପତ୍ର ହସ୍ତଲିପି, ଯାହା ଓଡ଼ିଶା ରାଜ୍ୟ ସଂଗ୍ରହାଳୟ, ଭୁବନେଶ୍ୱରରେ ସୁରକ୍ଷିତ ଭାବେ ସଂଗ୍ରହ କରାଯାଇଛି। ଏହି ଦୁଇଟି ହସ୍ତଲିପି ପୁରୀ ଜିଲ୍ଲା, ଓଡ଼ିଶାରୁ ସଂଗ୍ରହ କରାଯାଇଥିଲା ଓ ଏହା ପ୍ରାୟ ୧୮ଶ.
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ନାରାୟଣ ବୀରବର ସାମନ୍ତ (୨୧ ଅକ୍ଟୋବର ୧୯୦୦ - ୯ ଅପ୍ରେଲ ୧୯୯୯), ଜନ୍ମନାମ ମିହିର ଜଗଦ୍ଦେବ, ଓଡ଼ିଶାରେ କୁଜଙ୍ଗ ଗାନ୍ଧୀ ନାମରେ ପରିଚିତ ଓ ସ୍ଥାନୀୟ ଅଞ୍ଚଳରେ ସାଆନ୍ତେ ବୋଲି ଡକା, ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ଦୁଇ ଥର କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୪୬ର ଓଡ଼ିଶା ବିଧାନ ସଭା ନିର୍ବାଚନ ନିର୍ବାଚନରେ ସେ ପୂର୍ବ କଟକ ସଦର ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଏରସମା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ରାଜନେତା ରତ୍ନମାଳୀ ଜେମା ତାଙ୍କର ଜୀବନସାଥୀ, ଓଡ଼ିଆ ଅଧ୍ୟାପିକା ଓ ଲେଖିକା ପ୍ରତିଜ୍ଞା ଦେବୀ ତାଙ୍କ ଝିଅ ଓ ସାହିତ୍ୟିକ ମନୋଜ ଦାସ ତାଙ୍କର ଜ୍ୱାଇଁ ଥିଲେ ।
ଚଇତି ଘୋଡ଼ା ନାଚ (ଘୋଡ଼ା ନାଚ, ଚଇତାଳି ଘୋଡ଼ା ନାଟ ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ପାରମ୍ପରିକ ଲୋକନୃତ୍ୟ । ଏହା ମୁଖ୍ୟତଃ ଓଡ଼ିଶାର ଉପକୂଳ ଅଞ୍ଚଳରେ କେଉଟମାନଙ୍କଦ୍ୱାରା ଆରମ୍ଭ ହୋଇ ସେହି ଅଞ୍ଚଳମାନଙ୍କରେ ଚୈତ୍ର ମାସ ପୂର୍ଣ୍ଣିମା ତିଥିରେ ପରିବେଷିତ ହୋଇଥାଏ । କେଉଟମାନେ ବାଉଁଶ ବତାରେ ଘୋଡ଼ାର ପାଦହୀନ ଦେହ ଓ ବେକ ଆକାରର ଗୋଟିଏ ଥାଟ ତିଆରି କରି ତା ଉପରେ ଲୁଗା ଆଦି ଘୋଡ଼ାନ୍ତି ଓ ବେକ ଉପରେ ଘୋଡ଼ାମୁହଁ ପରି ଚିତ୍ରିତ ମୁଖାଟିଏ ଲଗାନ୍ତି ଉକ୍ତ ଚଇତିଘୋଡ଼ାର ପିଠିରେ ଗୋଟିଏ କଣା ଥାଏ ସେହି କଣାବାଟେ ମନୁଷ୍ୟ ଅଣ୍ଟା ପର୍ଯ୍ୟନ୍ତ ପଶି କରି ଭୂମିରେ ଠିଆହୁଏ ଓ ଘୋଡ଼ାରୂପର ଆଗରୁ ଓ ପଛରୁ ଡ଼ୋରି ଲଟକା ଯାଏ ମନୁଷ୍ୟର ଅଣ୍ଟାଠାରୁ ନିମ୍ନ ଅଂଶ ଘୋଡ଼ା ଭିତରେ ଲୁଚି ଥାଏ ଓ ଅଣ୍ଟାଠାରୁ ଉପର ଅଂଶ ଘୋଡ଼ା ଭିତରେ ବସିବା ପରି ଅନୁମିତ ହୁଏ । ଏ ବ୍ୟକ୍ତି ନାଚିବା ସଙ୍ଗେ ସଙ୍ଗେ ଘୋଡ଼ା ମଧ୍ୟ ନାଚେ ଘୋଡ଼ାର ମୁହଁଆଡ଼େ ଲଗାମପରି କନାଡ଼ୋରି ବନ୍ଧା ହୋଇଥାଏ ଉକ୍ତ ଡ଼ୋରିକୁ ନାଚିବାବାଲା ଧରି ଘୋଡ଼ାର ଲଗାମ ଧରିବାର ଅଭିନୟ କରେ କେଉଟମାନେ ଏହି ପର୍ବ ଉପଲକ୍ଷରେ ଚଢ଼େଇବା ଓ ଚଢ଼ଉଣୀ ବେଶ ହୋଇ ନାଚନ୍ତି ଓ ଗୀତ ବୋଲନ୍ତି ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମାନସିକ କଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଶା ପ୍ରିମିଅର ଲିଗ (ଓପିଏଲ୍) ହେଉଛି ଓଡ଼ିଶା କ୍ରିକେଟ ଆସୋସିଏସନ ଅଧିନରେ ଖେଲାଯାଉଥିବା ଏକ ଟ୍ୱେଣ୍ଟି୨୦ (Twenty20) କ୍ରିକେଟ ଖେଳ ପ୍ରତିଯୋଗିତା । ଏହା ଓଡ଼ିଶା କ୍ରିକେଟ ଆସୋସିଏସନଦ୍ୱାରା କଟକଠାରେ ଆରମ୍ଭ କରାଯାଇଥିଲା । ଇଣ୍ଡିଆନ ପ୍ରିମିଅର ଲିଗଦ୍ୱାରା ପ୍ରଭାବିତ ହୋଇ ଓଡ଼ିଶାରେ ଟ୍ୱେଣ୍ଟି୨୦ କ୍ରିକେଟର ପ୍ରସାର ପାଇଁ ଏହି ଖେଳର ଆରମ୍ଭ କରାଯାଇଛି । ରାଜ୍ୟର କ୍ରିକେଟ ଖେଳାଳିଙ୍କୁ ଭଲ ଖେଳ ପରିସର ଯୋଗାଇବା, ଭଲ ଖେଳ ପ୍ରଦର୍ଶନ ମାଧ୍ୟମରେ ଜାତୀୟ କ୍ରିକେଟ୍ରେ ନାମକୁ ଯୋଡ଼ିବା ତଥା ବ୍ୟବସାୟିକ ଭିତ୍ତିରେ ଭଲ ଅର୍ଥ ରୋଜଗାର କରିବା ଲକ୍ଷରେ ଓଡ଼ିଶା କ୍ରିକେଟ ଆସୋସିଏସନ ଆନୁକୂଲ୍ୟରେ ଓଡ଼ିଶା ପ୍ରିମିଅର ଲିଗ (ଓପିଏଲ୍)ର ପ୍ରଥମ ସଂସ୍କରଣ ୨୨ମଇରୁ ୧୨ ଜୁନ ୨୦୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା । ଇଣ୍ଡିଆନ୍ ପ୍ରିମିଅର ଲିଗ (ଆଇପିଏଲ୍) ଢାଞ୍ଚାରେ, ଓଡ଼ିଶା ପ୍ରିମିଅର ଲିଗ (ଓପିଏଲ୍) ନାମରେ ନାମିତ ଓ ପରିଚାଳିତ ଏହି ଟ୍ୱେଣ୍ଟି-୨୦ ଟୁର୍ଣ୍ଣାମେଣ୍ଟରେ ୧୦ଟି ଦଳ ଭାଗନେଇଥିଲେ | ୧୦ଟି ଦଳକୁ ଦୁଇଟି ଗ୍ରୁପ୍ରେ ବିଭକ୍ତ କରାଯାଇଥିଲା । ପ୍ରତି ଗ୍ରୁପ୍ର ଦଳ ପରସ୍ପର ସହ ଦୁଇଥର ଖେଳିଥିଲେ, ଉଭୟ ଗ୍ରୁପ୍ର ଶ୍ରେଷ୍ଠ ଚାରୋଟି ଦଳ ସେମିଫାଇନାଲ୍ ଖେଳିବା ପାଇଁ ଯୋଗ୍ୟତା ହାସଲ କରିଥିଲେ । ଓପିଏଲ୍ର ବିଜୟୀ ଦଳକୁ ୫ କି.ଗ୍ରା.
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି Akash Das Nayak ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
କୋଶଳାନନ୍ଦ କାବ୍ୟମ୍ ହେଉଛି ଏକ ସଂସ୍କୃତ କାବ୍ୟ ଗ୍ରନ୍ଥ, ଯାହାକୁ ୧୬୬୩ ଖ୍ରୀଷ୍ଟାବ୍ଦରେ ପଣ୍ଡିତ ଗଙ୍ଗାଧର ମିଶ୍ର ଓଡ଼ିଆ ଲିପିରେ ଖଜୁରୀ ପତ୍ରର ପାଣ୍ଡୁଲିପି ଉପରେ ରଚନା କରିଥିଲେ। ଏହି କୃତି ମଧ୍ୟରେ ପୁରୁଣା କୋଶଳ ରାଜ୍ୟର ଐତିହ୍ୟ, ଧାର୍ମିକତା, ସାହିତ୍ୟ ଓ ରାଜନୈତିକ ଦିଗକୁ ଚିତ୍ରିତ କରାଯାଇଛି। ଏହି କୃତିଟି ପଶ୍ଚିମ ଓଡିଶା ଅଞ୍ଚଳରେ ଚୌହାଣ ଶାସନର ଇତିହାସ ସମ୍ପର୍କରେ ରଚିତ ସଂସ୍କୃତ ସାହିତ୍ୟର ଏକ ଗୁରୁତ୍ୱପୂର୍ଣ୍ଣ କାବ୍ୟ ଅଟ। ପଣ୍ଡିତ ଗଙ୍ଗାଧର ମିଶ୍ର ସମ୍ବଲପୁରର ରାଜା ବଳିଆରସିଂହ ଦେବଙ୍କ (୧୬୫୦–୮୯ ଖ୍ରୀ.) ରାଜସଭା କବି ଥିଲେ। ରାଜା ପଣ୍ଡିତ ମିଶ୍ରଙ୍କୁ ତାଙ୍କ କବିତା ଓ ଜ୍ଞାନର ଦକ୍ଷତା ପାଇଁ ସମ୍ମାନିତ କରିଥିଲେ। ତାଙ୍କ କୃତି "କୋଶଳାନନ୍ଦ କାବ୍ୟମ୍" ମାଧ୍ୟମରେ ସେ ରାଜାଙ୍କ ଶାସନକାଳ ଓ ତାଙ୍କର ରାଜ୍ୟ ଇତିହାସକୁ କାବ୍ୟମୟ ଭାବେ ଉପସ୍ଥାପନ କରିଛନ୍ତି।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ହିଙ୍ଗୁଳା ମନ୍ଦିର ( ହିଙ୍ଗୁଳା ପୀଠ) ତାଳଚେର ଗଡ଼ର ଗୋପାଳପ୍ରସାଦ ଗ୍ରାମରେ ଅବସ୍ଥିତ । ଏହି ଅଗ୍ନୀରୂପା ମା’ ପରମ ବୈଷ୍ଣବୀ ନାରାୟଣୀ ଶୁମ୍ଭ ନିଶୁମ୍ବଙ୍କୁ ବଧ କରି ସୁବଳ ଓ ଦୁନ୍ଦୁଭିଙ୍କୁ ମାରିବାକୁ ଗଲାବେଳେ ତାଙ୍କ ସହ ଅଷ୍ଟ ମହାବିଦ୍ୟା ଯାଇଥିଲେ । ସେହି ଅଷ୍ଟମହାବିଦ୍ୟାଙ୍କ ମଧ୍ୟରେ ମା ହିଙ୍ଗୁଳା ଅନ୍ୟତମ । ତାଳଚେରସ୍ଥ ଏହି ପ୍ରସିଦ୍ଧ ହିଙ୍ଗୁଳାଙ୍କ ସମ୍ପର୍କରେ ଜନଶ୍ରୁତିରୁ ଜଣାଯାଏ ଯେ, ଏଠାରେ ପ୍ରବାହିତ ସିଙ୍ଗଡା ନଦୀରେ ଅକସ୍ମାତ ଜ୍ୱାଳାମୁଖୀ ଅଗ୍ନିଙ୍କର ଆବିର୍ଭାବ ଘଟିଲେ ହିଙ୍ଗୁଳାଙ୍କ ଅଧିଷ୍ଠାନ କରାଯାଉଥିଲା ଏବଂ କାଳକ୍ରମେ ଚୈତ୍ର ଶୁକ୍ଳ ଚତୁର୍ଦ୍ଦଶୀରେ ଅଗ୍ନିଜ୍ୱାଳା ରୂପେ ପୂଜାତା ହିଙ୍ଗୁଳାଙ୍କ ଯାତ୍ରା ଅନୁଷ୍ଠିତ ହେବାରେ ଲାଗିଲା । କ୍ରମେ ଏହା ହିଙ୍ଗୁଳାପୀଠକୁ ରୂପାନ୍ତରିତ ହେଇଥିଲା ।
ସରଳା ଦେବୀ (୧୯ ଅଗଷ୍ଟ ୧୯୦୪ - ୪ ଅକ୍ଟୋବର ୧୯୮୬ ) ଜଣେ ଭାରତୀୟ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଓ ଲେଖିକା ଥିଲେ । ବିଂଶ ଶତାବ୍ଦୀର ପ୍ରଥମ ଭାଗରେ ବ୍ରିଟିଶ ସରକାର ଅଧୀନରେ ଥିବା ବେଳେ ଭାରତରେ ନାରୀମାନଙ୍କର ସାମାଜିକ ଓ ରାଜନୈତିକ ଅଧିକାର ପାଇଁ ଆନ୍ଦୋଳନ ଆରମ୍ଭ ହେବା ସହ ନାରୀ ଶିକ୍ଷାର ପ୍ରଚାର ପ୍ରସାର ହୋଇଥିଲା । ସେହି ସମୟରେ ଏହାର ପ୍ରଭାବରେ ଓଡ଼ିଶାର ନାରୀନେତ୍ରୀ ରମାଦେବୀ, ମାଳତୀ ଚୌଧୁରୀ, ଗୋଦାବରୀ ଦେବୀ ପ୍ରମୁଖଙ୍କ ସହ ସେ ଭାରତର ସ୍ୱାଧୀନତା ଓ ନାରୀ ସ୍ୱାଧୀନତା ପାଇଁ ଲଢ଼ିଥିଲେ । ସେ ସତ୍ୟାଗ୍ରହରେ ଭାଗନେଇଥିବା ପ୍ରଥମ ଓଡ଼ିଆ ମହିଳା । ଇଞ୍ଚୁଡ଼ିଠାରେସେ ଲବଣ ସତ୍ୟାଗ୍ରହରେ ଭାଗନେଇଥିଲେ । ସ୍ୱାଧୀନତା ଆନ୍ଦୋଳନର ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସେ ଜେଲଦଣ୍ଡ ଭୋଗ କରିଥିଲେ ।
ସୁନ୍ଦର କୃଷ୍ଣ ଉର୍ସ (୧୯୪୧–୧୯୯୩) ଜଣେ ଭାରତୀୟ ଅଭିନେତା, ପ୍ରଯୋଜକ ଓ ନିର୍ଦ୍ଦେଶକ ଥିଲେ । ସେ କନ୍ନଡ଼ କଥାଚିତ୍ର ଜଗତ ସହିତ ଅନ୍ୟାନ୍ୟ ଦକ୍ଷିଣ ଭାରତୀୟ କଥାଚିତ୍ରରେ କାମ କରୁଥିଲେ । ସେ ଡବିଂ କଳାକାର ଭାବରେ ମଧ୍ୟ ଅନେକ କଳାକାରଙ୍କ ପାଇଁ ଡବ୍ କରିଛନ୍ତି । ଅଭିନେତା ଭାବରେ ତାଙ୍କର କେତେକ ଉଲ୍ଲେଖନୀୟ କଥାଚିତ୍ର ମଧ୍ୟରେ ସଂଗ୍ୟା ବାଲ୍ୟା (୧୯୯୨), ହୃଦୟ ହାଦିତୁ (୧୯୯୧), ହେଣ୍ଡଥିଗେଲବେଦୀ (୧୯୮୯), ଅନ୍ତ (୧୯୮୧) ଆଦି ଅନ୍ତର୍ଭୁକ୍ତ ।
ଶିଶୁ କନ୍ୟାକୁ ବଞ୍ଚାଅ, ଝିଅକୁ ପଢ଼ାଅ (Beti Bachao, Beti Padhao)(BBBP) ଭାରତ ସରକାରଙ୍କ ଏକ ଯୋଜନା ଯାହାର ଲକ୍ଷ୍ୟ ହେଉଛି ଶିଶୁ କନ୍ୟାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି, ମହିଳାଙ୍କ କାର୍ଯ୍ୟଦକ୍ଷତା ଏବଂ ସାମଗ୍ରିକ ଅଭିବୃଦ୍ଧି । ନରେନ୍ଦ୍ର ମୋଦୀ ୨୨ ଜାନୁଆରୀ ୨୦୧୫ରେ ହରିଆଣାର ପାନିପଥଠାରେ ଏହି ଯୋଜନାର ଉଦ୍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମର ପ୍ରାରମ୍ଭିକ କର୍ପସ ପାଣ୍ଠି ହେଉଛି ୧୦୦ କୋଟି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗଣମାଧ୍ୟମର ସ୍ୱାଧୀନତା ବା ମେଡ଼ିଆର ସ୍ୱାଧୀନତା ହେଉଛି ମୌଳିକ ନୀତି ଯେ ମୁଦ୍ରିତ ଏବଂ ଇଲେକ୍ଟ୍ରୋନିକ୍ ମିଡିଆ, ବିଶେଷକରି ପ୍ରକାଶିତ ସାମଗ୍ରୀ ସମେତ ବିଭିନ୍ନ ଗଣମାଧ୍ୟମ ମାଧ୍ୟମରେ ଯୋଗାଯୋଗ ଏବଂ ଅଭିବ୍ୟକ୍ତିକୁ ମୁକ୍ତ ଭାବରେ ବ୍ୟବହାର କରିବାର ଅଧିକାର ଭାବରେ ବିବେଚନା କରାଯିବା ଉଚିତ୍ । ଏଭଳି ସ୍ୱାଧୀନତାର ଅର୍ଥ ହେଉଛି ଅତ୍ୟଧିକ ପଛୁଆ ରାଜ୍ୟରୁ ହସ୍ତକ୍ଷେପ ନ ହେବା; ସମ୍ବିଧାନ କିମ୍ବା ଅନ୍ୟ ାନ୍ୟ ଆଇନଗତ ସୁରକ୍ଷା ଏବଂ ନିରାପତ୍ତା ମାଧ୍ୟମରେ ଏହାର ସଂରକ୍ଷଣ ଦାବି କରାଯାଇପାରେ । ଏହା ପେଡ୍ ପ୍ରେସର ବିରୋଧୀ, ଯେଉଁଠାରେ ସମ୍ପ୍ରଦାୟ, ପୋଲିସ ସଂଗଠନ ଏବଂ ସରକାରଙ୍କୁ ସେମାନଙ୍କର କପିରାଇଟ୍ ପାଇଁ ଦେୟ ପ୍ରଦାନ କରାଯାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଛୁରିଅନା ବକୁଳବନରୁ ତାଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ଏହା ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ତପନ କୁମାର ମିଶ୍ର ଏବେ ସମାଜର ସମ୍ପାଦକ ଏବଂ ପ୍ରଭାସ ଚନ୍ଦ୍ର ଆଚାର୍ଯ୍ୟ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।