ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସୁସ୍ମିତା ଦାସ ([susmit̪a d̪asɔ] (listen);)ଜଣେ ଓଡ଼ିଆ କଣ୍ଠଶିଳ୍ପୀ । ସେ ଆକାଶବାଣୀ କଟକ ଓ ଦୂରଦର୍ଶନର କାର୍ଯ୍ୟକ୍ରମରେ ଜଣେ ଗାୟିକା ରୂପେ କାର୍ଯ୍ୟ କରିଛନ୍ତି । ସୁସ୍ମିତା, ଓଡ଼ିଶା ଭିତରେ ତଥା ଓଡ଼ିଶା ବାହାରେ ଅନେକ ମଞ୍ଚରେ ଗୀତ ଗାଇଛନ୍ତି । ସେ ଆକାଶବାଣୀରେ ମୁଖ୍ୟତଃ ପୂରାତନ ଓଡ଼ିଆ ଗୀତ, ଆଧ୍ୟାତ୍ମିକ ଗୀତ ଏବଂ ଓଡ଼ିଶୀ ସଙ୍ଗୀତ ଆଦି ଗାଉଥିଲେ । ଏଥିସହ ସେ ମଞ୍ଚରେ ଓଡ଼ିଆ ଏବଂ ହିନ୍ଦୀ ଚଳଚ୍ଚିତ୍ରର ପୁରୁଣା ଗୀତ, ଦେବଦେବୀ ଭଜନ, ଗଜଲ, ଓଡ଼ିଶୀ ସଙ୍ଗୀତ, ଶାସ୍ତ୍ରୀୟ ସଙ୍ଗୀତ ତଥା ଚଳଚ୍ଚିତ୍ର ଦୁନିଆ ବ୍ୟତୀତ କିଛି ଆଧୁନିକ ଗୀତ ମଧ୍ୟ ଗାଇଥାନ୍ତି । ୨୦୨୧ ମସିହାରେ ସୁଗମ ସଙ୍ଗୀତ ପାଇଁ ତାଙ୍କୁ କେନ୍ଦ୍ର ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ମିଳିଥିଲା ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଶୈଳବାଳା ଦାସ, (ଶୈଳବାଳା ହାଜରା୧୮୭୫-୧୯୬୮) ଜଣେ ସମାଜସେବୀ ଥିଲେ । ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ତାଙ୍କର ମୁଖ୍ୟ ଭୂମିକା ଥିଲା।ମଧୁସୂଦନ ଦାସ ତାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ । ସେ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ୦୩ ଅପ୍ରେଲ ୧୯୫୨ରୁ ୦୨ ଅପ୍ରେଲ ୧୯୫୪ ପର୍ଯ୍ୟନ୍ତ ରାଜ୍ୟ ସଭାର ସଭ୍ୟ ଭାବେ କାର୍ଯ୍ୟ କରିଥିଲେ । ଶୈଳବାଳା ମହିଳା ମହାବିଦ୍ୟାଳୟ ତାଙ୍କରି ନାମରେ ନାମିତ ହୋଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଇସଲାମ (اَلْإِسْلَامُ - ଅଲ୍-ଇସ୍ଲାମ୍ - ଅର୍ଥାତ୍ ଈଶ୍ବରଙ୍କଠାରେ ସମର୍ପଣ) ଏକ ଏକେଶ୍ୱରବାଦୀ ଆବ୍ରାହମୀୟ ଧର୍ମ । ଏହାର ମୂଳ ଶିକ୍ଷା ହେଉଛି ଆଲ୍ଲା ଏକ ଏବଂ ଅଦ୍ୱିତୀୟ ତଥା ମହମ୍ମଦ ଈଶ୍ବରଙ୍କ ପୈଗମ୍ବର । ଇସଲାମ ଧର୍ମପନ୍ଥୀ ମୁସଲମାନ ଭାବେ ପରିଚିତ । ଏହାର ବିଶ୍ୱର ଦ୍ୱିତୀୟ ବୃହତ୍ତମ ଧର୍ମ ଏବଂ ଏଥିରେ ୧୮୦ କୋଟି ଲୋକ ଅଛନ୍ତି । ୪୯ଟି ଦେଶରେ ମୁସଲମାନମାନେ ସଂଖ୍ଯା ଗରିଷ୍ଠ ଅଛନ୍ତି । ଇସଲାମ ଶିକ୍ଷା ଦିଏ ଯେ - ଆଲ୍ଲା ଦୟାମୟ, ସର୍ବଶକ୍ତିମାନ ଏବଂ ଅଦ୍ୱିତୀୟ ତଥା ଭବିଷ୍ଯଦ୍ବକ୍ତା, ଗ୍ରନ୍ଥ ଏବଂ ପ୍ରାକୃତିକ ସଙ୍କେତଦ୍ୱାରା ମନୁଷ୍ଯମାନଙ୍କର ପଥପ୍ରଦର୍ଶନ କରିଥିଲେ । ଇସଲାମର ପ୍ରମୁଖ ଗ୍ରନ୍ଥ ହେଉଛି କୋରାନ - ଆଲ୍ଲାଙ୍କ ମୁଖ ନିଃସୃତ ବାଣୀ ତଥା ସୁନ୍ନାଃ - ପୈଗମ୍ବର ମହମ୍ମଦଙ୍କ ନୈତିକ ଶିକ୍ଷା ତଥା ଜୀବନୀ ।
ସଂସ୍କୃତ (, संस्कृत-, saṃskṛta-, ସାଧାରଣତଃ संस्कृतम्, saṃskṛitam) ବିଶ୍ବର ଏକ ପୁରାତନ ତଥା ଭାରତରେ ପ୍ରଚଳିତ ଏକ ଶାସ୍ତ୍ରୀୟ ଭାଷା । ଏହା ଭାରୋପୀୟ ଭାଷା ପରିବାରର ଏକ ଆର୍ଯ୍ୟ ଭାଷା । ଏହାର ପୂର୍ବବର୍ତ୍ତୀ ଭାଷାଗୁଡ଼ିକ ପ୍ରାକ୍ତନ ତାମ୍ର ଯୁଗରେ ଉତ୍ତର-ପଶ୍ଚିମରୁ ବିସ୍ତାର ଲାଭ କଲାପରେ ଏହା ଦକ୍ଷିଣ ଏସିଆରେ ବ୍ୟାପୀଥିଲା । ସଂସ୍କୃତ ହିନ୍ଦୁ ଧର୍ମର ପବିତ୍ର ଭାଷା ଓ ଶାସ୍ତ୍ରୀୟ ହିନ୍ଦୁ ଦର୍ଶନ ଶାସ୍ତ୍ରରେ, ବୌଦ୍ଧ ଏବଂ ଜୈନ ଧର୍ମର ଐତିହାସିକ ପାଠ୍ୟରେ ବ୍ୟବହାର ହୋଇଥିଲା । ଏହା ପ୍ରାଚୀନ ଏବଂ ମଧ୍ୟଯୁଗୀୟ ଦକ୍ଷିଣ ଏସିଆରେ ଏକ ସଂଯୋଗ ଭାଷା ଥିଲା ଏବଂ ପ୍ରାରମ୍ଭିକ ମଧ୍ୟଯୁଗୀୟ ଯୁଗରେ ଦକ୍ଷିଣ ପୂର୍ବ ଏସିଆ, ପୂର୍ବ ଏସିଆ ଏବଂ ମଧ୍ୟ ଏସିଆକୁ ହିନ୍ଦୁ ଏବଂ ବୌଦ୍ଧ ସଂସ୍କୃତି ବ୍ୟାପିବା ପରେ ଏହା ଧର୍ମ ଏବଂ ଉଚ୍ଚ ସଂସ୍କୃତିର ଭାଷା ଏବଂ ଏହି କ୍ଷେତ୍ରରେ ରାଜନୈତିକ ଉଚ୍ଚବର୍ଗଙ୍କ ଭାଷାରେ ପରିଣତ ହୋଇଥିଲା । ଫଳରେ ବିଶେଷ କରି ବିଭିନ୍ନ ଦକ୍ଷିଣ ଏସିଆ, ଦକ୍ଷିଣପୂର୍ବ ଏସିଆ ଏବଂ ପୂର୍ବ ଏସିଆର ଭାଷାଗୁଡ଼ିକର ଔପଚାରିକ ଏବଂ ପରିବର୍ତ୍ତିତ ଶବ୍ଦାବଳୀ ଉପରେ ସଂସ୍କୃତ ସ୍ଥାୟୀ ପ୍ରଭାବ ପକାଇଥିଲା । ସଂସ୍କୃତ ସାଧାରଣତଃ ଅନେକ ପୁରୁଣା ଇଣ୍ଡୋ-ଆର୍ଯ୍ୟ ଭାଷା ପ୍ରକାରକୁ ସୂଚାଏ । ଏହାର ସବୁଠାରୁ ପୁରୁଣା ହେଉଛି ଋକବେଦରେ ମିଳୁଥିବା ବୈଦିକ ସଂସ୍କୃତ । ତାହା ଖ୍ରୀ.ପୂ. ୧୫୦୦ ମସିହାରୁ ଖ୍ରୀ.ପୂ. ୧୨୦୦ ମସିହା ମଧ୍ୟରେ ରଚନା କରାଯାଇଥିବା ୧,୦୨୮ଟି ଶ୍ଳୋକକୁ ନେଇ ଗଠିତ ଓ ଏସବୁକୁ ବର୍ତ୍ତମାନର ଉତ୍ତର ପାକିସ୍ତାନ ଓ ଆଫଗାନିସ୍ତାନରୁ ଉତ୍ତର ଭାରତର ଆଡ଼କୁ ପୂର୍ବମୁଖୀ ହୋଇ ପ୍ରବାସ କରୁଥିବା ଇଣ୍ଡୋ-ଆର୍ଯ୍ୟ ଜନଜାତିମାନେ ରଚନା କରିଥିଲେ । ବୈଦିକ ସଂସ୍କୃତ ଭାରତୀୟ ଉପମହାଦେଶର ପୂର୍ବବର୍ତ୍ତୀ ପ୍ରାଚୀନ ଭାଷାମାନଙ୍କ ସହ ଆଦାନ ପ୍ରଦାନ କରିବା ବେଳେ ପ୍ରଥମ କରି ଭେଟିଥିବା ଗଛ ଏବଂ ପଶୁମାନଙ୍କ ନାମ ମଧ୍ୟ ଆହରଣ କରିଥିଲା । ଏହା ବ୍ୟତୀତ ପ୍ରାଚୀନ ଦ୍ରାବିଡ଼ ଭାଷାଗୋଷ୍ଠୀ ସଂସ୍କୃତର ଧ୍ୱନିବିଜ୍ଞାନ ଏବଂ ଗଠନକୁ ପ୍ରଭାବିତ କରିଥିଲେ । "ସଂସ୍କୃତ" ମଧ୍ୟ ଅତି ସାଧାରଣ ଭାବେ ଶାସ୍ତ୍ରୀୟ ସଂସ୍କୃତକୁ ସୂଚାଏ । ଶାସ୍ତ୍ରୀୟ ସଂସ୍କୃତ ଏକ ୧ମ ମସିହାର ମଧ୍ୟଭାଗରେ ଉତ୍ପନ୍ନ ହୋଇଥିବା ଏବଂ ପ୍ରାଚୀନ ବ୍ୟାକରଣଗୁଡ଼ିକ ମଧ୍ୟରେ ସବୁଠାରୁ ବ୍ୟାପକ ଭାବେ ପାଣିନୀଙ୍କ ଅଷ୍ଟାଧ୍ୟାୟୀଦ୍ୱାରା ("ଆଠଟି ଅଧ୍ୟାୟ") ମାନକୀକରଣ ହୋଇଥିଲା । କାଳିଦାସ ସଂସ୍କୃତ ଭାଷାର ସର୍ବଶ୍ରେଷ୍ଠ ନାଟ୍ୟକାର ଓ ସେ ଶାସ୍ତ୍ରୀୟ ସଂସ୍କୃତରେ ଲେଖୁଥିଲେ । ଆଧୁନିକ ଗଣିତର ମୂଳଦୁଆ ପ୍ରଥମେ ଶାସ୍ତ୍ରୀୟ ସଂସ୍କୃତରେ ବର୍ଣ୍ଣନା କରାଯାଇଥିଲା । ତେବେ ସଂସ୍କୃତରେ ରଚିତ ଦୁଇ ପ୍ରମୁଖ ମହାକାବ୍ୟ ମହାଭାରତ ଏବଂ ରାମୟଣ ବିଭିନ୍ନ ମୌଖିକ କାହାଣୀ ବର୍ଣ୍ଣନା ଶୈଳୀରେ ରଚିତ ଓ ଏହି ସଂସ୍କୃତକୁ ମହାକାବ୍ୟ ସଂସ୍କୃତ କୁହାଯାଉଥିଲା । ଏହା ଉତ୍ତର ଭାରତରେ ଖ୍ରୀ.ପୂ.
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷାର ସାମୁହିକ ବ୍ୟବହାର ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ଓଡ଼ିଆ ଭାଷା ଆନ୍ଦୋଳନ ନାମରେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଭାରତର ଏକ କେନ୍ଦ୍ରଶାସିତ ଅଞ୍ଚଳ ଅଟେ । ଏହା ଅଧୀନରେ ୮୩୬ଟି ଦ୍ୱୀପ ରହିଛି, ଯାହାର ୩୮ ଦ୍ୱୀପରେ ଜନବସତି ସ୍ଥାପନ ହୋଇଛି । ଏହି ଦ୍ୱୀପପୁଞ୍ଜ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରର ମିଳନ ସ୍ଥଳରେ ଅବସ୍ଥିତ । ଏହି ରାଜ୍ଯକ୍ଷେତ୍ରଟି ଇଣ୍ଡୋନେସିଆର ଆକେଃଠାରୁ ପ୍ରାୟ ୧୫୦ କି.ମି. ଦୂରରେ ଅବସ୍ଥିତ । ଏହା ଶ୍ୟାମଦେଶ ଓ ବ୍ରହ୍ମଦେଶଠାରୁ ଆଣ୍ଡାମାନ ସାଗର ଦ୍ୱାରା ପୃଥକ୍ ହୋଇଛି । ଏଥିରେ ଦୁଇଟି ଦ୍ୱୀପଗୋଷ୍ଠୀ ରହିଛି; (ଆଂଶିକ) ଆଣ୍ଡାମାନ ଦ୍ୱୀପପୁଞ୍ଜ ଓ ନିକୋବର ଦ୍ୱୀପପୁଞ୍ଜ, ଯାହା ପରସ୍ପରଠାରୁ ୧୫୦ କି.ମି. ଚଉଡାର ଦଶ ଡିଗ୍ରୀ ପ୍ରଣାଳୀଦ୍ୱାରା ପୃଥକ୍ ହୋଇଛନ୍ତି (ଏହି ପ୍ରଣାଳୀଟି ୧୦°ଉ.
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ୧୪ଶ ଶତାବ୍ଦୀରେ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ପଦ୍ୟାବଳୀ ରଚନା । ଭାଗବତ ପ୍ରଥମେ ତାଳପତ୍ର ପୋଥି ଭାବରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ପ୍ରତି ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା । ଓଡ଼ିଆ ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧ ଦଶରୁ ତିରିଶଟି ଅଧ୍ୟାୟ ବିଭକ୍ତ । ହୋଇ ଏଭଳି ରଚିତ ଯେ ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସମାପ୍ତ ହେବ ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ସମୁଦ୍ର ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ନଟବର ସାମନ୍ତରାୟ (୨୩ ଡିସେମ୍ବର ୧୯୧୮ - ୧୭ ଅଗଷ୍ଟ ୨୦୦୦) ଜଣେ ଓଡ଼ିଆ ଲେଖକ ଓ ସାହିତ୍ୟ ସମୀକ୍ଷକ ଥିଲେ । ତାଙ୍କର କେତେକ ଜଣାଶୁଣା ସାହିତ୍ୟ-ଐତିହାସିକ ରଚନାବଳୀଗୁଡ଼ିକ ମଧ୍ୟରୁ ଓଡ଼ିଆ ସାହିତ୍ୟର ଇତିହାସ (୧୮୦୩-୧୯୨୦) , ଆଧୁନିକ ଓଡ଼ିଆ ସାହିତ୍ୟର ଭିତ୍ତିଭୂମି, ଏବଂ ବ୍ୟାସକବି ଫକୀରମୋହନ ଆଦି ପ୍ରମୁଖ । ତାଙ୍କ ସମୀକ୍ଷା ଲିଖନସବୁ ଜଣାଶୁଣା ଓଡ଼ିଆ ଲେଖକ ଫକୀରମୋହନ ସେନାପତି ଓ ରାଧାନାଥ ରାୟ ଆଦିଙ୍କ ରଚନା ଉପରେ ପର୍ଯ୍ୟବସିତ । ତାଙ୍କ ଐତିହାସିକ ଗବେଷଣା ବ୍ରିଟିଶ ଶାସନ କାଳରେ ଉପକୂଳ ଓଡ଼ିଶା ଉପରେ ତାହାର ପ୍ରଭାବକୁ ନେଇ ୧୮୦୩ ମସିହାରୁ ୧୯୨୦ ମସିହା ଭିତରେ ପ୍ରକାଶିତ ପ୍ରମୁଖ ଓଡ଼ିଆ ରଚନାବଳୀ ଏବଂ ତତ୍କାଳୀକ ଆଧୁନିକ ଓଡ଼ିଆ ସାହିତ୍ୟ ଉପରେ ବ୍ରିଟିଶ ଶାସନର ପ୍ରଭାବର ଏକ ସବିଶେଷ ବିଶ୍ଳେଷଣ ।
ବର୍ଷା ସିଂହ ବରିହା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୨ ମସିହାରେ ପଦ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସେ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚରେ, ସେ ପଦ୍ମପୁରରୁ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୁଜରାଟ ( Gujarat [ˈɡudʒəɾɑt] (listen)) ଭାରତର ପଶ୍ଚିମ ଓ ଦକ୍ଷିଣପଶ୍ଚିମରେ ଥିବା ଏକ ରାଜ୍ୟ । ଏହାର ସମୁଦ୍ରତଟ 1,600 km (990 mi) ଓ ତାହାର ଅଧିକାଂଶ ଭାଗ କାଠିଆୱାଡ଼ ଉପଦ୍ୱୀପରେ ଅବସ୍ଥିତ । ଗୁଜରାଟର ମୋଟ ଜନସଂଖ୍ୟା ୬୦ ମିଲିଅନ । ଭାରତର ପଶ୍ଚିମରେ ଥିବା ଗୁଜରାଟର ପଶ୍ଚିମରେ ଆରବ ସାଗର ଉତ୍ତରରେ ସିନ୍ଧ (ପାକିସ୍ତାନ), ଉତ୍ତରପୂର୍ବରେ ରାଜସ୍ଥାନ, ପୂର୍ବରେ ମଧ୍ୟ ପ୍ରଦେଶ ଏବଂ ଦକ୍ଷିଣ ପୂର୍ବରେ ମହାରାଷ୍ଟ୍ର ରାଜ୍ୟ ତଥା ଡାମନ ଓ ଡିଉ ଏବଂ ଦାଦ୍ରା ଓ ନଗର ହବେଳୀ କେନ୍ଦ୍ରଶାସିତ ଅଞ୍ଚଳ ରହିଛି । ଗୁଜରାଟର ରାଜଧାନୀ ଗାନ୍ଧୀନଗର । ଅମଦାବାଦ ଗୁଜରାଟର ଏକମାତ୍ର ମହାନଗରୀ । ଗୁଜରାଟ ରାଜ୍ୟର ନାମ "ଗୁଜ୍ଜର"ରୁ ଆସିଛି ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
'ରବୀନ୍ଦ୍ରନାଥ ଠାକୁର ' ( (listen); Bengali pronunciation: [robind̪ro nat̪ʰ ʈʰakur]), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କଠାରୁ ପ୍ରେରଣା ଲାଭ କରିଥିଲା ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ୱାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ଭୁପୃଷ୍ଠ୍ଠରେ ଏକ ଚୁମ୍ବକୀୟ କ୍ଷେତ୍ର ଅନବରତ ପ୍ରଭାବୀ ରହିଛି । କାରଣ୍, ଆମ ପୃଥିବୀ ଏକ ବିରାଟ ଚୁମ୍ବକ ଭଳି କାର୍ଯ୍ୟ କରେ । ଏକଥା ବିଶଦ୍ ଭାବେ ବୁଝିବାପାଇଁଁ କଳ୍ପନା କରାଯାଇପାରେ ଯେ, ପୃଥିବୀ ମଧ୍ୟରେ ଏକ ବିରାଟ ଦଣ୍ଡ ଚୁମ୍ବକ ଉତ୍ତର-ଦକ୍ଷିଣ ଭାବରେ ପୃଥିବୀର କାଳ୍ପନିକ ମେରୁ ସହ ପ୍ରାୟ ୧୧ ଡିଗ୍ରୀ କୌଣିକ ଦୂରତ୍ୱରେ ରହିଛି । ତେବେ ଏହି କାଳ୍ପନିକ ଚୁମ୍ବକର ଉତ୍ତର ମେରୁ ପୃଥିବୀର ଭୌଗୋଳିକ ଦକ୍ଷିଣ ମେରୁ ନିକଟରେ ଏବଂ ଏହି କାଳ୍ପନିକ ଚୁମ୍ବକର ଦକ୍ଷିଣ ମେରୁ ପୃଥିବୀର ଭୌଗୋଳିକ ଉତ୍ତର ମେରୁ ନିକଟରେ ଅବସ୍ଥିତ । ଫଳରେ, ଏକ ଚୁମ୍ବକୀୟ କ୍ଷେତ୍ର ପୃଥିବୀର ଅଭ୍ୟନ୍ତରରୁ ଭୁପୃଷ୍ଠ ଉପରିସ୍ଥ ସୌର-ପବନ ସ୍ତର ପର୍ଯ୍ୟନ୍ତ ବ୍ୟାପି ଥିବାର ଜଣାଯାଏ । ଏହା ପୃଥିବୀର ଚୁମ୍ବକୀୟ କ୍ଷେତ୍ର ଭାବେ ପରିଚିତ । ଏହା ମଧ୍ୟ ଭୁ-ଚୁମ୍ବକୀୟ କ୍ଷେତ୍ର (Geomagnetic field) ନାମରେ ପରିଚିତ । ଭୁ-ଚୁମ୍ବକୀୟ କ୍ଷେତ୍ରର ଦିଗ ଏବଂ ଅବସ୍ଥିତି କାଳାନୁପାତରେ ଅତି ମନ୍ଥର ଗତିରେ ପରିବର୍ତ୍ତନ ହେବାର ନଜିର ରହିଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସେଣ୍ଟିନେଲି ଜନଜାତି ବା ସେଣ୍ଟିନେଲ୍ ଜନଜାତି ବା ସେଣ୍ଟିନେଲୀୟ (ଇଂରାଜୀରେ Sentinelese, Sentineli ଓ North Sentinel Islanders ଭାବେ ପରିଚିତ) ଭାରତରେ ବଙ୍ଗୋପସାଗର ମଧ୍ୟସ୍ଥ ଉତ୍ତର ସେଣ୍ଟିନେଲ୍ ଦ୍ୱୀପରେ ବାସ କରୁଥିବା ଏକ ଆଦିମ ଜନଜାତିକୁ ବୁଝାଇଥାଏ । ଆଧୁନିକ ଓ ସାମାଜିକ ଜୀବନ ସଂସ୍ପର୍ଶରେ ଆସିନଥିବା ବିଭିନ୍ନ ଆଦିମ ଜନଜାତିଙ୍କ ମଧ୍ୟରେ ଏମାନେ ଅନ୍ୟତମ । ଆଣ୍ଡାମାନର ସ୍ଥାନୀୟ ଲୋକ ଭାବେ ପରିଗଣିତ ସେଣ୍ଟିନେଲିମାନେ ଏକ “ଅନୁସୂଚୀତ ଜନଜାତି” ଓ ଏମାନଙ୍କ ଜନଜାତିର ସ୍ଥିତି ସଙ୍କଟାପନ୍ନ ବୋଲି କୁହାଯାଉଛି ।