ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପରଶୁରାମ (ସଂସ୍କୃତ: परशुराम, IAST: Paraśurāma, ଜଣେ ପରଶୁଧାରୀ ରାମ) ହିନ୍ଦୁ ଧର୍ମରେ ବିଷ୍ଣୁଙ୍କର ଷଷ୍ଠ ଅବତାର । ପୁରାଣ ଅନୁସାରେ ସେ ଜଣେ ଚିରଞ୍ଜୀବୀ ଓ ସେ କଳି ଯୁଗ ଶେଷରେ ବିଷ୍ଣୁଙ୍କ ଦଶମ ଏବଂ ଶେଷ ଅବତାର କଳ୍କୀଙ୍କର ଗୁରୁ ଭାବେ ଅବତରିବେ । ସେ ଆକ୍ରମଣ, ଯୁଦ୍ଧ ଓ ବୀରତ୍ୱ ପ୍ରଦର୍ଶନ ସହ ଶାନ୍ତି, ଜ୍ଞାନ ଏବଂ ଧୈର୍ଯ୍ୟ ଭଳି ଅନେକ ଗୁଣ ଧାରଣ କରିଥିଲେ । ଯେତେବେଳେ ପୃଥିବୀରେ ଅତ୍ୟଧିକ ପାପ ବୃଦ୍ଧି ହେଲା, ସେତେବେଳେ ବିଷ୍ଣୁଙ୍କର ପୃଥିବୀ ପୃଷ୍ଠରେ ପର୍ଶୁରାମ ଅବତାର ନେବା ପାଇଁ ପୂର୍ବରୁ ଭବିଷ୍ୟବାଣୀ କରାଯାଇଥିଲା । ଅସ୍ତ୍ରଶସ୍ତ୍ର ଓ କ୍ଷମତା ଯୋଗୁଁ କ୍ଷତ୍ରିୟମାନେ ସେମାନଙ୍କର କ୍ଷମତାର ଅପବ୍ୟବହାର କରିବା, ଅନ୍ୟର ଜିନିଷକୁ ବଳପୂର୍ବକ ଗ୍ରହଣ କରିବା ଏବଂ ଲୋକଙ୍କୁ ଅତ୍ୟାଚାର କରିବା ଆରମ୍ଭ କରି ଦେଇଥିଲେ । ପର୍ଶୁରାମ ଏହି କ୍ଷତ୍ରୀୟ ଯୋଦ୍ଧାମାନଙ୍କୁ ବିନାଶ କରି ବ୍ରହ୍ମାଣ୍ଡର ସନ୍ତୁଳନ ରକ୍ଷା କଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା)ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ସମୁଦ୍ର ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଭୁପୃଷ୍ଠ୍ଠରେ ଏକ ଚୁମ୍ବକୀୟ କ୍ଷେତ୍ର ଅନବରତ ପ୍ରଭାବୀ ରହିଛି । କାରଣ୍, ଆମ ପୃଥିବୀ ଏକ ବିରାଟ ଚୁମ୍ବକ ଭଳି କାର୍ଯ୍ୟ କରେ । ଏକଥା ବିଶଦ୍ ଭାବେ ବୁଝିବାପାଇଁଁ କଳ୍ପନା କରାଯାଇପାରେ ଯେ, ପୃଥିବୀ ମଧ୍ୟରେ ଏକ ବିରାଟ ଦଣ୍ଡ ଚୁମ୍ବକ ଉତ୍ତର-ଦକ୍ଷିଣ ଭାବରେ ପୃଥିବୀର କାଳ୍ପନିକ ମେରୁ ସହ ପ୍ରାୟ ୧୧ ଡିଗ୍ରୀ କୌଣିକ ଦୂରତ୍ୱରେ ରହିଛି । ତେବେ ଏହି କାଳ୍ପନିକ ଚୁମ୍ବକର ଉତ୍ତର ମେରୁ ପୃଥିବୀର ଭୌଗୋଳିକ ଦକ୍ଷିଣ ମେରୁ ନିକଟରେ ଏବଂ ଏହି କାଳ୍ପନିକ ଚୁମ୍ବକର ଦକ୍ଷିଣ ମେରୁ ପୃଥିବୀର ଭୌଗୋଳିକ ଉତ୍ତର ମେରୁ ନିକଟରେ ଅବସ୍ଥିତ । ଫଳରେ, ଏକ ଚୁମ୍ବକୀୟ କ୍ଷେତ୍ର ପୃଥିବୀର ଅଭ୍ୟନ୍ତରରୁ ଭୁପୃଷ୍ଠ ଉପରିସ୍ଥ ସୌର-ପବନ ସ୍ତର ପର୍ଯ୍ୟନ୍ତ ବ୍ୟାପି ଥିବାର ଜଣାଯାଏ । ଏହା ପୃଥିବୀର ଚୁମ୍ବକୀୟ କ୍ଷେତ୍ର ଭାବେ ପରିଚିତ । ଏହା ମଧ୍ୟ ଭୁ-ଚୁମ୍ବକୀୟ କ୍ଷେତ୍ର (Geomagnetic field) ନାମରେ ପରିଚିତ । ଭୁ-ଚୁମ୍ବକୀୟ କ୍ଷେତ୍ରର ଦିଗ ଏବଂ ଅବସ୍ଥିତି କାଳାନୁପାତରେ ଅତି ମନ୍ଥର ଗତିରେ ପରିବର୍ତ୍ତନ ହେବାର ନଜିର ରହିଛି ।
ଇସଲାମ (اَلْإِسْلَامُ - ଅଲ୍-ଇସ୍ଲାମ୍ - ଅର୍ଥାତ୍ ଈଶ୍ବରଙ୍କଠାରେ ସମର୍ପଣ) ଏକ ଏକେଶ୍ୱରବାଦୀ ଆବ୍ରାହମୀୟ ଧର୍ମ । ଏହାର ମୂଳ ଶିକ୍ଷା ହେଉଛି ଆଲ୍ଲା ଏକ ଏବଂ ଅଦ୍ୱିତୀୟ ତଥା ମହମ୍ମଦ ଈଶ୍ବରଙ୍କ ପୈଗମ୍ବର । ଇସଲାମ ଧର୍ମପନ୍ଥୀ ମୁସଲମାନ ଭାବେ ପରିଚିତ । ଏହାର ବିଶ୍ୱର ଦ୍ୱିତୀୟ ବୃହତ୍ତମ ଧର୍ମ ଏବଂ ଏଥିରେ ୧୮୦ କୋଟି ଲୋକ ଅଛନ୍ତି । ୪୯ଟି ଦେଶରେ ମୁସଲମାନମାନେ ସଂଖ୍ଯା ଗରିଷ୍ଠ ଅଛନ୍ତି । ଇସଲାମ ଶିକ୍ଷା ଦିଏ ଯେ - ଆଲ୍ଲା ଦୟାମୟ, ସର୍ବଶକ୍ତିମାନ ଏବଂ ଅଦ୍ୱିତୀୟ ତଥା ଭବିଷ୍ଯଦ୍ବକ୍ତା, ଗ୍ରନ୍ଥ ଏବଂ ପ୍ରାକୃତିକ ସଙ୍କେତଦ୍ୱାରା ମନୁଷ୍ଯମାନଙ୍କର ପଥପ୍ରଦର୍ଶନ କରିଥିଲେ । ଇସଲାମର ପ୍ରମୁଖ ଗ୍ରନ୍ଥ ହେଉଛି କୋରାନ - ଆଲ୍ଲାଙ୍କ ମୁଖ ନିଃସୃତ ବାଣୀ ତଥା ସୁନ୍ନାଃ - ପୈଗମ୍ବର ମହମ୍ମଦଙ୍କ ନୈତିକ ଶିକ୍ଷା ତଥା ଜୀବନୀ ।
ବ୍ରହ୍ମା-ବିଷ୍ଣୁ-ମହେଶ୍ୱରଙ୍କୁ ହିନ୍ଦୁଧର୍ମ ବିଶ୍ୱାସରେ ସୃଷ୍ଟି,ସ୍ଥିତି ଓ ସଂହାରର ନିୟନ୍ତା ରୂପେ ବିବେଚନା କରାଯାଏ ।ମହେଶ୍ୱର ଶିବ ସୃଷ୍ଟିର ସମସ୍ତ ଅନିଷ୍ଟକାରୀ, ଅପଶକ୍ତି, ଅନ୍ୟାୟ ଓ ଅନୀତିକୁ ସଂହାର କରି ସଂସାରକୁ ସୁଖଶାନ୍ତି ପ୍ରଦାନ କରନ୍ତି । ସେ ଦେବଦେବ ମହାଦେବ-ସତ୍ୟ, ଶିବ, ସୁନ୍ଦର ଆଶୁବର ପ୍ରଦାନକାରୀ ଆଶୁତୋଷ । ସେ ଅକାଳମୃତ୍ୟୁ ହରଣର ମହାଶକ୍ତି ମୃତ୍ୟୁଞ୍ଜୟ । ସାଗର ମନ୍ଥନରୁ ଜାତ ହଳାହଳ ବିଷ ପ୍ରକୋପରୁ ସମଗ୍ର ସୃଷ୍ଟିକୁ ରକ୍ଷା କରିବା ପାଇଁ ଶିବ ସେହି ବିଷ ନିଜେ ପାନ କରିଦେବାରୁ ତାଙ୍କର କଣ୍ଠ ନୀଳବର୍ଣ୍ଣ । ତେଣୁ ତାଙ୍କର ନାମ ନୀଳକଣ୍ଠ ମୃତ୍ୟୁଞ୍ଜୟ ।
ମୁସଲମାନମାନେ ଏକେଶ୍ୱରବାଦୀ ଇବ୍ରାହିମୀୟ ଧର୍ମସମ୍ପ୍ରଦାୟ ଇସଲାମ ଅନୁଗାମୀ । ମୁସଲମାନଙ୍କ ପବିତ୍ର ଧର୍ମଗ୍ରନ୍ଥ କୋରାନ ଓ ସେମାନଙ୍କ ମତରେ ଏହି କୋରାନ ବାସ୍ତବରେ ଆଲ୍ଲାଙ୍କ ମୁଖନିଃସୃତ ବାଣୀ ଯାହା ପୈଗମ୍ବର ମହମ୍ମଦଙ୍କ ସମ୍ମୁଖରେ ଉନ୍ମୋଚନ କରାଯାଇଥିଲା । ଅଧିକାଂଶ ମୁସଲମାନ ମହମ୍ମଦଙ୍କ ଜୀବନଶୈଳୀ ସୁନାଃ ତଥା ହଦିଥ (କିମ୍ବଦନ୍ତୀ) ମଧ୍ଯ ଅନୁସରଣ କରିଥାନ୍ତି । ମୁସଲମାନ ଏକ ଆରବୀ ଶବ୍ଦ ଓ ଏହାର ଅର୍ଥ ସମର୍ପକ ।
ବିଶାଖା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାସକୁ ବୈଶାଖ (ବଇଶାଖ ନାମରେ ମଧ୍ୟ ଜଣା) କୁହାଯାଏ । ବୈଶାଖ ଶାଳିବାହନ ଶକାବ୍ଦର ପ୍ରଥମ ମାସ । ବୈଶାଖ ଓଡ଼ିଆ ହିନ୍ଦୁମାନଙ୍କର ପ୍ରଥମ ଚାନ୍ଦ୍ରମାନ ମାସ । ଏ ମାସ ଚୈତ୍ର ପୂର୍ଣ୍ଣିମା ପର ଦିନଠାରୁ ଆରମ୍ଭ ହୁଏ; ଏହାର ପୂର୍ବବର୍ତ୍ତୀ ମାସ ଚୈତ୍ର ଓ ପରବର୍ତ୍ତୀ ମାସ ଜ୍ୟୈଷ୍ଠ । ଏହି ମାସ ଓ ଏହାର ପରବର୍ତ୍ତୀ ମାସ ଗ୍ରୀଷ୍ମ ଋତୁ । ହିନ୍ଦୁମାନଙ୍କର ଏହା ଏକ ଧର୍ମ ମାସ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ୧୪ଶ ଶତାବ୍ଦୀରେ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ପଦ୍ୟାବଳୀ ରଚନା । ଭାଗବତ ପ୍ରଥମେ ତାଳପତ୍ର ପୋଥି ଭାବରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ପ୍ରତି ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା । ଓଡ଼ିଆ ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧ ଦଶରୁ ତିରିଶଟି ଅଧ୍ୟାୟ ବିଭକ୍ତ । ହୋଇ ଏଭଳି ରଚିତ ଯେ ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସମାପ୍ତ ହେବ ।
ସଚିନ ରମେଶ ତେନ୍ଦୁଲକର(pronunciation (ଜନ୍ମ-୨୪ ଅପ୍ରେଲ ୧୯୭୩)ପୂର୍ବତନ ଭାରତୀୟ କ୍ରିକେଟ ଖେଳାଳି ଓ ବିଶ୍ୱ କ୍ରିକେଟର ସର୍ବକାଳୀନ ଶ୍ରେଷ୍ଠ ବ୍ୟାଟସମ୍ୟାନ ଭାବରେ ସାରା ବିଶ୍ୱରେ ପରିଚିତ । ସେ ଉଭୟ ଟେଷ୍ଟ ଓ ଦିନିକିଆ କ୍ରିକେଟରେ ବିଶ୍ୱର ସବୁଠାରୁ ଅଧିକ ରନ କରିଥିବା କ୍ରିକେଟର । ସେ କ୍ରିକେଟରେ ସବୁଠାରୁ ଅଧିକ ଶତକ ହାସଲ କରିଥିବ ଖେଳାଳି। ସଚିନ ପ୍ରଥମ ଖେଳାଳି ଭାବେ ଏକ ଦିବସୀୟ କ୍ରିକେଟରେ ଦ୍ୱିଶତକ ଅର୍ଜନ କରିଥିଲେ । .
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଏବଂ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ପ୍ରକ୍ରିୟାକରଣ କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର ( RAM memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ତର୍କ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ସିନ୍ଧୁ ନଦୀ(ଇଂରାଜୀରେ Indus River) ଏସିଆ ମହାଦେଶର ଦୀର୍ଘତମ ନଦୀମାନଙ୍କ ମଧ୍ୟରୁ ଅନ୍ୟତମ । ତିବ୍ବତ ମାଳଭୂମିରେ ମାନସରୋବର ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରୁ ଏହି ନଦୀର ଉତ୍ପତ୍ତି । ନିଜ ଉତ୍ପତ୍ତିସ୍ଥଳରୁ ବାହାରି ଏହି ନଦୀ ଲଦାଖ ଅଞ୍ଚଳ ଅତିକ୍ରମ କରି ଗିଲ୍ଗିଟ୍-ବାଲ୍ଟିସ୍ତାନରେ ହିନ୍ଦୁକୁଶ ପର୍ବତମାଳାର ଉପତ୍ୟକାରେ ପ୍ରବେଶ କରିଛି । ତାହା ପରେ ଏହା ଦକ୍ଷିଣମୁଖୀ ହୋଇ ପାକିସ୍ତାନରେ ପ୍ରବାହିତ ହୋଇ ବନ୍ଦର ନଗରୀ କରାଚୀ ନିକଟରେ ଆରବ ସାଗର ସହିତ ସମ୍ମିଳିତ ହୋଇଛି । ସିନ୍ଧୁ ନଦୀ ପାକିସ୍ତାନର ଦୀର୍ଘତମ ନଦୀ ଓ ଏହାକୁ ପାକିସ୍ତାନର ଜାତୀୟ ନଦୀ ବୋଲି କୁହାଯାଏ ।
ଗୌରହରି ଦାସ (ଜନ୍ମ: ୯ ଅକ୍ଟୋବର ୧୯୬୦) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ସ୍ତମ୍ଭକାର । ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି । ସଂପ୍ରତି ସେ ଓଡ଼ିଆ ଖବରକାଗଜ ସମ୍ବାଦର ସାହିତ୍ୟ ସମ୍ପାଦକ ଏବଂ କଥା ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରନ୍ତି । ସେ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଆ ଆଣ୍ଡ କଲ୍ଚର" ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ । ପୂର୍ବରୁ ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଥିଲେ । ତାଙ୍କର ସାହିତ୍ୟ ରଚନା ନିମନ୍ତେ ଅନ୍ୟାନ୍ୟ ପୁରସ୍କାର ଓ ସମ୍ମାନ ସମେତ ସେ ସେ ୨୦୧୨ ମସିହାରେ "କଣ୍ଟା ଓ ଅନ୍ୟାନ ଗଳ୍ପ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଏବଂ ୨୦୦୧ରେ "ନିଜ ସାଙ୍ଗେ ନିଜର ଲଢ଼େଇ" ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ତାଙ୍କର "ବାଘ ଓ ଅନ୍ୟାନ୍ୟ ଗଳ୍ପ" ଗଳ୍ପସଂକଳନ ନିମନ୍ତ ସେ ୨୦୨୨ ମସିହାରେ ଶାରଳା ପୁରସ୍କାର ପାଇଁ ମନୋନୀତ ହୋଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ମା ବିମଳା ଶ୍ରୀମନ୍ଦିର ମଧ୍ୟରେ ଥିବା ଏକ ଶାକ୍ତ ବା କୌଳଭୈରବୀଙ୍କ ମନ୍ଦିର । ମୂଳାଷ୍ଟମୀ ଅବସରରେ ଶ୍ରୀମନ୍ଦିରର ଅଧିଷ୍ଠାତ୍ରୀ ଦେବୀ ମା’ବିମଳାଙ୍କ ଷୋଡ଼ଶ ଦିନାତ୍ମକ ଶାରଦୀୟ ପୂଜା ପାରମ୍ପରିକ ରୀତିମତେ ଆରମ୍ଭ ହୋଇଥାଏ ଓ ଆଶ୍ୱିନ ଶୁକ୍ଳନବମୀ ପର୍ଯ୍ୟନ୍ତ ଚାଲେ । ଏହି ସମୟରେ ମହାସପ୍ତମୀ, ମହାଷ୍ଟମୀ, ମହାନବମୀ ଦିନ ଅର୍ଦ୍ଧରାତ୍ରି ସମୟରେ ଯେତେବେଳେ ମହାନିଶା ସମୟ ଆସିଥାଏ,ତିନି ଦିନ ସେହି ସମୟରେ ପଶୁପ୍ରୋକ୍ଷଣ ବା ବଳିଦାନ ଅନୁଷ୍ଠିତ ହୋଇଥାଏ । ଶ୍ରୀମନ୍ଦିର ସତ୍ତ୍ୱଲିପି ଅନୁସାରେ ବିମଳାଙ୍କ ଷୋଳଦିନ ପୂଜା ଭିତରେ କୌଣସି ସ୍ତ୍ରୀଲୋକ ମନ୍ଦିର ଭିତରକୁ ଯାଆନ୍ତି ନାହିଁ ।
ବାଘ ବା ବ୍ୟାଘ୍ର (ଇଂରାଜୀରେ Tiger, ସାନ୍ତାଳୀରେ ᱛᱟᱹᱨᱩᱵ, ସମ୍ବଲପୁରୀରେ ବାଘ୍, ହିନ୍ଦୀରେ बाघ, ଜୀବବିଜ୍ଞାନ ନାମ Panthera tigris) ବିରାଡି ପ୍ରଜାତିର ସର୍ବବୃହତ ଜୀବପ୍ରଜାତି । ଏହାର ଈଷତ୍ ହଳଦିିଆ ବା କମଳା ରଙ୍ଗର ଚମଡ଼ାରେ କଳା ରଙ୍ଗର ପଟା ପଟା ଦାଗ ଥାଏ ଓ ପେଟଟି ଧଳା ରଙ୍ଗର ହୋଇଥାଏ । ବାଘ, ସିଂହ, କଲରାପତରିଆ ବାଘ, ଜାଗୁଆର ଓ ହିମ କଲରାପତ୍ରିଆ ବାଘ ଇତ୍ୟାଦି ଜୀବ ପାନ୍ଥେରା ପ୍ରଜାତି ଭାବେ ପରିଗଣିତ ହୋଇଥାନ୍ତି । ବାଘ ନିଜ ପରିବାସର ଖାଦ୍ୟଶୃଙ୍ଖଳର ସର୍ବୋଚ୍ଚତମ ମାଂସାସୀ ଜୀବ । ଗୋରୁ ଓ ହରିଣ ପ୍ରଭୃତି ତୃଣଭୋଜୀ ପ୍ରାଣୀ ଏହାର ମୁଖ୍ୟ ଶିକାର । ବାଘମାନେ ମୁଖ୍ୟତଃ ଏକାକୀ ଜୀବନଯାପନ କରନ୍ତି, କେବଳ କେତେକ ପରିସ୍ଥିତିରେ କିଛି ବାଘମାନଙ୍କୁ ଏକାଠି ମିଳିମିଶି ରହୁଥିବା ଦେଖାଯାଏ । ବାଘମାନେ ସାଧାରଣତଃ ନିଜର ଏକ ଶିକାର କ୍ଷେତ୍ର ନିର୍ଦ୍ଧାରଣ କରି ତାହାର ନିୟନ୍ତ୍ରଣ କରନ୍ତି । ଶିକାରର ଚାହିଦା ମେଣ୍ଟାଇ ପାରୁଥିବା ଏକ ବିରାଟ ଅଞ୍ଚଳକୁ ସାଧାରଣତଃ ବାଘମାନେ ନିଜର ପରିବାସ ବା ଶିକାର କ୍ଷେତ୍ର ରୂପେ ଚୟନ କରିଥାନ୍ତି । ଅନେକ କାରଣରୁ ପୃଥିବୀର କେତେକ ଦେଶରେ ମନୁଷ୍ୟ ଓ ବାଘ ମୁହାଁମୁହିଁ ହେବା ଭଳି ପରିସ୍ଥିତି ସୃଷ୍ଟି ହୋଇଥାଏ ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।