ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା)ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭୀମବେଟ୍କା ଶୈଳାଶ୍ରୟ (ଇଂରାଜୀ ଭାଷାରେ Bhimbetka rock shelters) କେନ୍ଦ୍ରୀୟ ଭାରତରେ ଅବସ୍ଥିତ ଏକ ପ୍ରତ୍ନତାତ୍ତ୍ୱିକ ସ୍ଥଳ । ପୁରାତନ ପ୍ରସ୍ତର ଯୁଗ ଓ ମଧ୍ୟକାଳୀନ ପ୍ରସ୍ତର ଯୁଗରୁ ଏହି ଶୈଳାଶ୍ରୟ ଭୀମବେଟ୍କାଠାରେ ରହିଥିଲା ଓ ବ୍ୟବହୃତ ହେଉଥିଲା । ଭାରତୀୟ ଉପମହାଦ୍ୱୀପରେ ସର୍ବ ପୁରାତନ ଜନବସତି ଓ ପ୍ରସ୍ତର ଯୁଗ ଜନବସତିର ଏକ ଜ୍ୱଳନ୍ତ ପ୍ରମାଣ ହେଉଛି ଭୀମବେଟ୍କା । ଭାରତର ମଧ୍ୟ ପ୍ରଦେଶ ରାଜ୍ୟର ରାଜଧାନୀ ଭୋପାଳଠାରୁ ୪୫ କିଲୋମିଟର୍ ଦକ୍ଷିଣ-ପୂର୍ବ ଦିଗରେ ରାଇସେନ ଜିଲ୍ଲାରେ ଭୀମବେଟ୍କା ଅବସ୍ଥିତ । ଭୀମବେଟ୍କା ଏକ ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳ ଯେଉଁଠାରେ ୭ଟି ପାହାଡ଼ରେ ପ୍ରାୟ ପ୍ରାୟ ୭୫୦ଟି ଶୈଳାଶ୍ରୟ ୧୦ କିଲୋମିଟର୍ ଲମ୍ବା ଅଞ୍ଚଳରେ ବ୍ୟାପ୍ତ ହୋଇ ରହିଛି । ପ୍ରାୟ ୧ ଲକ୍ଷ ବର୍ଷ ପୂର୍ବେ ଏହି ଶୈଳାଶ୍ରୟମାନଙ୍କରେ ଆଦିମ ମାନବ ବସବାସ କରୁଥିଲେ । ଭୀମବେଟ୍କା ଆଦିମ ଜନବସତିମାନେ ଶିକାରରୁ କୃଷି ଓ ତା’ ପରେ ଆଧ୍ୟାତ୍ମିକତା ଆଡ଼କୁ ମୁହାଁଇବାର ଓ ସାଂସ୍କୃତିକ କ୍ରମବିବର୍ତ୍ତନର ଏକ "ବିରଳ ଉଦାହରଣ" ବୋଲି ବ୍ରିଟାନିକା ଜ୍ଞାନକୋଷରେ ଉଲ୍ଲିଖିତ ଅଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ସମୁଦ୍ର ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ବିଶାଖା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାସକୁ ବୈଶାଖ (ବଇଶାଖ ନାମରେ ମଧ୍ୟ ଜଣା) କୁହାଯାଏ । ବୈଶାଖ ଶାଳିବାହନ ଶକାବ୍ଦର ପ୍ରଥମ ମାସ । ବୈଶାଖ ଓଡ଼ିଆ ହିନ୍ଦୁମାନଙ୍କର ପ୍ରଥମ ଚାନ୍ଦ୍ରମାନ ମାସ । ଏ ମାସ ଚୈତ୍ର ପୂର୍ଣ୍ଣିମା ପର ଦିନଠାରୁ ଆରମ୍ଭ ହୁଏ; ଏହାର ପୂର୍ବବର୍ତ୍ତୀ ମାସ ଚୈତ୍ର ଓ ପରବର୍ତ୍ତୀ ମାସ ଜ୍ୟୈଷ୍ଠ । ଏହି ମାସ ଓ ଏହାର ପରବର୍ତ୍ତୀ ମାସ ଗ୍ରୀଷ୍ମ ଋତୁ । ହିନ୍ଦୁମାନଙ୍କର ଏହା ଏକ ଧର୍ମ ମାସ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ଇସଲାମ (اَلْإِسْلَامُ - ଅଲ୍-ଇସ୍ଲାମ୍ - ଅର୍ଥାତ୍ ଈଶ୍ବରଙ୍କଠାରେ ସମର୍ପଣ) ଏକ ଏକେଶ୍ୱରବାଦୀ ଆବ୍ରାହମୀୟ ଧର୍ମ । ଏହାର ମୂଳ ଶିକ୍ଷା ହେଉଛି ଆଲ୍ଲା ଏକ ଏବଂ ଅଦ୍ୱିତୀୟ ତଥା ମହମ୍ମଦ ଈଶ୍ବରଙ୍କ ପୈଗମ୍ବର । ଇସଲାମ ଧର୍ମପନ୍ଥୀ ମୁସଲମାନ ଭାବେ ପରିଚିତ । ଏହାର ବିଶ୍ୱର ଦ୍ୱିତୀୟ ବୃହତ୍ତମ ଧର୍ମ ଏବଂ ଏଥିରେ ୧୮୦ କୋଟି ଲୋକ ଅଛନ୍ତି । ୪୯ଟି ଦେଶରେ ମୁସଲମାନମାନେ ସଂଖ୍ଯା ଗରିଷ୍ଠ ଅଛନ୍ତି । ଇସଲାମ ଶିକ୍ଷା ଦିଏ ଯେ - ଆଲ୍ଲା ଦୟାମୟ, ସର୍ବଶକ୍ତିମାନ ଏବଂ ଅଦ୍ୱିତୀୟ ତଥା ଭବିଷ୍ଯଦ୍ବକ୍ତା, ଗ୍ରନ୍ଥ ଏବଂ ପ୍ରାକୃତିକ ସଙ୍କେତଦ୍ୱାରା ମନୁଷ୍ଯମାନଙ୍କର ପଥପ୍ରଦର୍ଶନ କରିଥିଲେ । ଇସଲାମର ପ୍ରମୁଖ ଗ୍ରନ୍ଥ ହେଉଛି କୋରାନ - ଆଲ୍ଲାଙ୍କ ମୁଖ ନିଃସୃତ ବାଣୀ ତଥା ସୁନ୍ନାଃ - ପୈଗମ୍ବର ମହମ୍ମଦଙ୍କ ନୈତିକ ଶିକ୍ଷା ତଥା ଜୀବନୀ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ବିପ୍ଳବୀ ଧରଣୀଧର ଭୂୟାଁ (୧୮୬୪-୧୯୧୪) ଓଡ଼ିଶାର ଜଣେ ସୁନାମଧନ୍ୟ ବିପ୍ଳବୀ ଥିଲେ । ୧୮୯୧ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜାଙ୍କ ଅତ୍ୟାଚାର ବିରୁଦ୍ଧରେ ଯେଉଁ ପ୍ରଜାମେଳି ହୋଇଥିଲା, ତାହାର ନେତୃତ୍ୱ ନେଇଥିଲେ ବିପ୍ଳବୀ ଧରଣୀଧର । ଏହି ବିଦ୍ରୋହ କେନ୍ଦୁଝର ରାଜ୍ୟର ନିର୍ଦ୍ଦିଷ୍ଟ ସୀମା ଓ ସମ୍ପୃକ୍ତ ଅଞ୍ଚଳର ଆଦିବାସୀ ସଂପ୍ରଦାୟ ମଧ୍ୟରେ ସୀମିତ ଥିଲେ ମଧ୍ୟ ସମଗ୍ର ଓଡ଼ିଶା ଏପରିକି ସାରା ଭାରତବର୍ଷରେ ଚହଳ ପକାଇଥିଲା । ତାଙ୍କର ସ୍ମୃତିରେ କେନ୍ଦୁଝରର ଧରଣୀଧର ମହାବିଦ୍ୟାଳୟର ନାମକରଣ ହୋଇଛି ।
ଶୁକ୍ରବାର ହେଲା ସପ୍ତାହର ଏକ ଦିନ ଯାହା ଗୁରୁବାର ପରେ ଓ ଶନିବାର ପୂର୍ବରୁ ଆସେ । ହିନ୍ଦୁ ଧାର୍ମିକ ପରମ୍ପରାରେ ଶୁକ୍ରବାର ଶକ୍ତିମାତା ଏବଂ ଗ୍ରହଦେବତା ଶୁକ୍ରଙ୍କୁ ସମର୍ପିତ । ଶକ୍ତିଙ୍କ ସ୍ୱରୂପ ହେଲେ ଦେବୀ ମାତା ଦୁର୍ଗା ଏବଂ ତାଙ୍କର ଅବତାର କାଳୀ, ଅନ୍ନପୂର୍ଣ୍ଣେଶ୍ୱରୀ ଏବଂ ସନ୍ତୋଷୀ I ଏହି ଦିନ ମୁଖ୍ୟତଃ ଦେବୀ ସନ୍ତୋଷୀ ମାତାଙ୍କ ସମ୍ମାନର୍ଥେ ବ୍ରତଧାରଣ କରାଯାଇଥାଏ I ଏହି ବ୍ରତ-ଉପବାସ ‘ଷୋହଳ ଶୁକ୍ରବାର ବ୍ରତ’ ଭାବେ ସମଗ୍ର ଭାରତରେ ପ୍ରସିଦ୍ଧ I କାରଣ ବ୍ରତଧାରୀମାନେ କ୍ରମାଗତ ଭାବେ ୧୬ଟି ଶୁକ୍ରବାରରେ ଉପବାସ ପାଳନ କରିଥା‘ନ୍ତି I ମା'ସନ୍ତୋଷୀଙ୍କୁ ପୂଜା କଲେ ସୁଖ, ଶାନ୍ତି ପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ୱାସ ରହିଛି । ଯେକୌଣସି ମାସର ଶୁକ୍ଳପକ୍ଷରୁ ଏହି ବ୍ରତ ଆରମ୍ଭ କରାଯାଇଥାଏ । ଏହିଦିନରେ ଶୁଭ୍ର-ଶ୍ୱେତ ବର୍ଣ୍ଣକୁ ଗୁରୁତ୍ୱ ଦିଆଯାଏ I ଏହିଦିନରେ ଶକ୍ତିଙ୍କର ଉପାସନା ଅତ୍ୟନ୍ତ ପବିତ୍ର କର୍ମବିଶେଷ I ଭାରତର ବିଭିନ୍ନ ଅଞ୍ଚଳରେ ଥିବା ଶକ୍ତି ଉପାସନା ଧର୍ମପୀଠ ଗୁଡ଼ିକରେ ଏହିଦିନ ପ୍ରବଳ ଜନସମାଗମ ହୋଇଥାଏ I ଭକ୍ତ-ଶ୍ରଦ୍ଧାଳୁମାନେ ଶ୍ୱେତବସ୍ତ୍ର ପରିଧାନପୂର୍ବକ ପୂଜାପାଠ କରିଥା’ନ୍ତି I ସୂର୍ଯ୍ୟୋଦୟ ପୂର୍ବରୁ ଉପବାସ ଆରମ୍ଭ ହୋଇ ଭଙ୍ଗ କରାଯାଏ ସୂର୍ଯ୍ୟାସ୍ତ ପରେ I ବ୍ରତଧାରୀମାନେ କେବଳ ରାତ୍ରିଭୋଜନ ଗ୍ରହଣ କରିଥା’ନ୍ତି I ଦୁଗ୍ଧ ଏବଂ ଖିରି ଭଳି ଶ୍ୱେତବର୍ଣ୍ଣା ଖାଦ୍ୟ-ଦ୍ରବ୍ୟ ଗ୍ରହଣ କରିବା ବିଧି ସର୍ବତ୍ର ପ୍ରଚଳିତ । ମା'ସନ୍ତୋଷୀଙ୍କ ବ୍ରତଧାରୀଙ୍କୁ ଶୁକ୍ରବାର ଦିନ ଖଟା ଓ ଆମିଷ ଖାଦ୍ୟ ବାରଣ କରାଯାଇଥାଏ । ବ୍ରତ ଶେଷରେ ହଳଦି, ଗୁଡ଼ ଓ ଚଣାର ଭୋଗ ଲଗାଯାଏ ।
ଉତ୍ତରାଖଣ୍ଡର ରାଜ୍ୟର ଗଡ଼ୱାଲ ଅଞ୍ଚଳରେ ସମୁଦ୍ର ପତ୍ତନରୁ ପ୍ରାୟ ୩୫୮୧ ମିଟର ଉଚ୍ଚ କେଦାର ଉପତ୍ୟକାରେ ପବିତ୍ର ମନ୍ଦାକିନୀ ନଦୀ ତଟରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ମନ୍ଦିର ଅବସ୍ତିତ । ଭଗବାନ ଶିବ ଶ୍ରୀକେଦାରନାଥ ଜ୍ୟୋଲିର୍ଲିଙ୍ଗ ରୂପେ ହିମାଳୟ କୋଳରେ ବିରାଜ ମାନ ହେଇଛନ୍ତି । ହିନ୍ଦୁଶାସ୍ତ୍ର,ପୁରାଣ ଓ ପୁରାତନ ରଚନାମାନଙ୍କରେ ଏହି ଅଞ୍ଚଳକୁ କେଦାରଖଣ୍ଡ ଭାବେ ବର୍ଣ୍ଣନା କରାଯାଇଛି ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ହେପାଟାଇଟିସ ବି ଏକ ସଂକ୍ରାମକ ରୋଗ ଯାହା ହେପାଟାଇଟିସ ବି ଭୂତାଣୁଦ୍ୱାରା ହୁଏ ଓ ଏହା ଯକୃତକୁ ଆକ୍ରମଣ କରି ପ୍ରଦାହ ସୃଷ୍ଟି କରେ । ଏହା ଉଭୟ ତ୍ୱରିତ ଓ ଦୀର୍ଘସ୍ଥାୟୀ ରୋଗ କରେଇ ପାରେ । ସଂକ୍ରମଣ ପ୍ରାରମ୍ଭରେ ଏନେକ ଲୋକଙ୍କଠାରେ କୌଣସି ଲକ୍ଷଣ ଦେଖାଯାଏ ନାହିଁ । କେତେକ ରୋଗୀ ଶୀଘ୍ର ରୋଗା ଅନୁଭବ କରି ବାନ୍ତି କରନ୍ତି, ଚମ ହଳଦିଆ ଦେଖାଯାଏ, ଥକ୍କା ଲାଗେ, ଗାଢ଼ ପରିସ୍ରା ହୁଏ ଓ ପେଟ ଯନ୍ତ୍ରଣା ହୁଏ । ଅଧିକାଂଶ ସମୟରେ ରୋଗ କିଛି ସପ୍ତାହ ପର୍ୟ୍ୟନ୍ତ ରହେ, କ୍ୱଚିତ୍ ଏହି ସମୟରେ ମୃତ୍ୟୁ ହୁଏ । ସଂକ୍ରମଣର ୩୦ରୁ ୧୮୦ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଜନ୍ମ ସମୟରେ ସଂକ୍ରମିତ ହେଲେ ୯୦ % କେଶ୍ରେ ଦୀର୍ଘସ୍ଥାୟୀ ହେପାଟାଇଟିସ ବି ରୋଗ ହୁଏ କିନ୍ତୁ ୫ ବର୍ଷ ବୟସ ପରେ ସଂକ୍ରମିତ ହେଲେ ୧୦ %ରୁ କମ୍ ଲୋକଙ୍କର ଏ ଭଳି ହୁଏ । ଅଧିକାଂଶ ଦୀର୍ଘସ୍ଥାୟୀ ରୋଗୀ ଲକ୍ଷଣହୀନ ଥାଆନ୍ତି, କିନତୁ ସିରୋସିସ୍ ଓ ଯକୃତ କର୍କଟ ଅବଶେଷରେ ହୁଏ । ଏହି ଜଟିଳତା ଯୋଗୁ ୧୫ରୁ ୨୫ % ଲୋକ ମୃତ୍ୟୁ ମୁଖରେ ପତିତ ହୁଅନ୍ତି ।
ବ୍ରାହ୍ମଣୀ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ । ଶଙ୍ଖ ଓ କୋଏଲ ନାମକ ଦୁଇଟି ନଦୀ ଝାଡ଼ଖଣ୍ଡ ରାଜ୍ୟର ଛୋଟନାଗପୁର ମାଳଭୂମିରୁ ଉତ୍ପନ୍ନ । ଏହି ଦୁଇନଦୀ ସୁନ୍ଦରଗଡ଼ ଜିଲ୍ଲାରେ ରାଉରକେଲା ସହର ନିକଟବର୍ତ୍ତୀ ପାନପୋଷଠାରେ ମିଳିତ ହୋଇ ଗୋଟିଏ ନଦୀ ହୋଇଛନ୍ତି । ଏହାର ନାମ ବ୍ରାହ୍ମଣୀ । ଏହା କଟକ ଜିଲ୍ଲାରେ ଯାଜପୁର ଅଞ୍ଚଳର ବୈତରଣୀ ନଦୀ ସହିତ ମିଶି ବଙ୍ଗୋପସାଗରରେ ପଡ଼ିଅଛି । ରାଉରକେଲା, ବଣେଇଗଡ଼, ଭୁବନ, ତାଳଚେର, ଜେନାପୁର, ବିଞ୍ଝାରପୁର, ଡେରାବିଶ ଓ ପଟ୍ଟାମୁଣ୍ଡାଇ ଏହି ନଦୀର କୂଳରେ ଅବସ୍ଥିତ । ବ୍ରାହ୍ମଣୀ ନଦୀରେ ବେଶୀ ବନ୍ୟା ହେଲେ ଯାଜପୁର ଅଞ୍ଚଳର କ୍ଷତି ହୁଏ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ସାଧାରଣତଃ ଖରାବେଳେ ବା ଉପରଓଳି ପଖାଳ ଖିଆଯାଏ । ପଖାଳର ଲୋକାଦୃତି ଓ ପ୍ରସାର ଉଦ୍ଦେଶ୍ୟରେ ମାର୍ଚ୍ଚ ମାସ ୨୦ ତାରିଖକୁ ପଖାଳ ଦିବସ ଭାବେ ନାମିତ କରାଯାଇଛି ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ସିନ୍ଧୁ ନଦୀ(ଇଂରାଜୀରେ Indus River) ଏସିଆ ମହାଦେଶର ଦୀର୍ଘତମ ନଦୀମାନଙ୍କ ମଧ୍ୟରୁ ଅନ୍ୟତମ । ତିବ୍ବତ ମାଳଭୂମିରେ ମାନସରୋବର ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରୁ ଏହି ନଦୀର ଉତ୍ପତ୍ତି । ନିଜ ଉତ୍ପତ୍ତିସ୍ଥଳରୁ ବାହାରି ଏହି ନଦୀ ଲଦାଖ ଅଞ୍ଚଳ ଅତିକ୍ରମ କରି ଗିଲ୍ଗିଟ୍-ବାଲ୍ଟିସ୍ତାନରେ ହିନ୍ଦୁକୁଶ ପର୍ବତମାଳାର ଉପତ୍ୟକାରେ ପ୍ରବେଶ କରିଛି । ତାହା ପରେ ଏହା ଦକ୍ଷିଣମୁଖୀ ହୋଇ ପାକିସ୍ତାନରେ ପ୍ରବାହିତ ହୋଇ ବନ୍ଦର ନଗରୀ କରାଚୀ ନିକଟରେ ଆରବ ସାଗର ସହିତ ସମ୍ମିଳିତ ହୋଇଛି । ସିନ୍ଧୁ ନଦୀ ପାକିସ୍ତାନର ଦୀର୍ଘତମ ନଦୀ ଓ ଏହାକୁ ପାକିସ୍ତାନର ଜାତୀୟ ନଦୀ ବୋଲି କୁହାଯାଏ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ଼ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।
ଭୁପୃଷ୍ଠ୍ଠରେ ଏକ ଚୁମ୍ବକୀୟ କ୍ଷେତ୍ର ଅନବରତ ପ୍ରଭାବୀ ରହିଛି । କାରଣ୍, ଆମ ପୃଥିବୀ ଏକ ବିରାଟ ଚୁମ୍ବକ ଭଳି କାର୍ଯ୍ୟ କରେ । ଏକଥା ବିଶଦ୍ ଭାବେ ବୁଝିବାପାଇଁଁ କଳ୍ପନା କରାଯାଇପାରେ ଯେ, ପୃଥିବୀ ମଧ୍ୟରେ ଏକ ବିରାଟ ଦଣ୍ଡ ଚୁମ୍ବକ ଉତ୍ତର-ଦକ୍ଷିଣ ଭାବରେ ପୃଥିବୀର କାଳ୍ପନିକ ମେରୁ ସହ ପ୍ରାୟ ୧୧ ଡିଗ୍ରୀ କୌଣିକ ଦୂରତ୍ୱରେ ରହିଛି । ତେବେ ଏହି କାଳ୍ପନିକ ଚୁମ୍ବକର ଉତ୍ତର ମେରୁ ପୃଥିବୀର ଭୌଗୋଳିକ ଦକ୍ଷିଣ ମେରୁ ନିକଟରେ ଏବଂ ଏହି କାଳ୍ପନିକ ଚୁମ୍ବକର ଦକ୍ଷିଣ ମେରୁ ପୃଥିବୀର ଭୌଗୋଳିକ ଉତ୍ତର ମେରୁ ନିକଟରେ ଅବସ୍ଥିତ । ଫଳରେ, ଏକ ଚୁମ୍ବକୀୟ କ୍ଷେତ୍ର ପୃଥିବୀର ଅଭ୍ୟନ୍ତରରୁ ଭୁପୃଷ୍ଠ ଉପରିସ୍ଥ ସୌର-ପବନ ସ୍ତର ପର୍ଯ୍ୟନ୍ତ ବ୍ୟାପି ଥିବାର ଜଣାଯାଏ । ଏହା ପୃଥିବୀର ଚୁମ୍ବକୀୟ କ୍ଷେତ୍ର ଭାବେ ପରିଚିତ । ଏହା ମଧ୍ୟ ଭୁ-ଚୁମ୍ବକୀୟ କ୍ଷେତ୍ର (Geomagnetic field) ନାମରେ ପରିଚିତ । ଭୁ-ଚୁମ୍ବକୀୟ କ୍ଷେତ୍ରର ଦିଗ ଏବଂ ଅବସ୍ଥିତି କାଳାନୁପାତରେ ଅତି ମନ୍ଥର ଗତିରେ ପରିବର୍ତ୍ତନ ହେବାର ନଜିର ରହିଛି ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।