ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପଲିସିଷ୍ଟିକ କିଡନୀ ରୋଗ (ଇଂରାଜୀ ଭାଷାରେ Polycystic kidney disease/ PKD/ PCKD) ଏକ ଅନୁବଂଶିକ ରୋଗ ଯାହା ବୃକ୍କ ମଧ୍ୟରେ ଅନେକ ସିଷ୍ଟ ସୃଷ୍ଟି କରିଥାଏ । ଏହି ରୋଗ ଜନ୍ମ ପୂର୍ବରୁ, ବାଲ୍ୟକାଳରେ କିମ୍ବା ବୟସ୍କ ଅବସ୍ଥାରେ ସୃଷ୍ଟି ହୋଇପାରେ | ଜନ୍ମ ପୂର୍ବରୁ ସୃଷ୍ଟି ହୋଇଥିଲେ ବିକାଶ ହୁଏ ନାହିଁ କିମ୍ବା ଶ୍ୱାସକ୍ରିୟାରେ ସମସ୍ୟା ସୃଷ୍ଟି ହୋଇପାରେ | ଅନ୍ୟଥା ଉଦର ପାର୍ଶ୍ୱ ଯନ୍ତ୍ରଣା, ରକ୍ତମେହ ଏବଂ ମୁଣ୍ଡ ବିନ୍ଧା ଆଦି ଲକ୍ଷଣଗୁଡ଼ିକ ଦେଖାଯାଇପାରେ | ରୋଗ ଜଟିଳ ହେଲେ ବୃକ୍କ ବିଫଳତା, ଉଚ୍ଚ ରକ୍ତଚାପ, ଯକୃତ ସିଷ୍ଟ, ଆଓର୍ଟିକ ଆନିଉରିଜ୍ମ, ଏବଂ ସେରେବ୍ରାଲ ଆନିଉରିଜ୍ମ ହୋଇପାରେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
କଲେରା ମାନବ କ୍ଷୁଦ୍ର ଅନ୍ତନଳୀରେ ଜୀବାଣୁ ଭିବ୍ରିଓ କଲେରିର କେତେକ ପ୍ରଜାତିଦ୍ୱାରା ହେଉଥିବା ରୋଗର ନାମ । ଓଡ଼ିଆରେ ଏହାକୁ ବିସୂଚିକା, ଓଲାଉଠା, ମହାମାରୀ ଓ ହଇଜା ନାମ ମଧ୍ୟ ଦିଆଯାଇଛି । ଏହାର ଲକ୍ଷଣ: ସାମାନ୍ୟରୁ ଗମ୍ଭୀର ଧରଣର ହୋଇପାରେ, କିଛି ବି ନ ହୋଇପାରେ । ସ୍ୱାଭାବିକ ଲକ୍ଷଣ ମଧ୍ୟରେ ବହୁତ ପରିମାଣର ପାଣିଭଳି ତରଳ ଝାଡ଼ା କିଛି ଦିନ ହୁଏ । ବାନ୍ତି ଓ ମାଂସପେଶୀ କ୍ରାମ୍ପ ହୋଇପାରେ । ଅତ୍ୟଧିକ ତରଳ ଝାଡ଼ା ହେଲେ କିଛି ଘଣ୍ଟା ମଧ୍ୟରେ ଗମ୍ଭୀର ନିର୍ଜଳନ ଓ ଇଲେକ୍ଟ୍ରୋଲାଇଟ ଅସନ୍ତୁଳନ ହୁଏ । ଏହାଦ୍ୱାରା ଆଖି କୋଟରଗତ ହୁଏ, ଚର୍ମ ଥଣ୍ଡା ହୁଏ ତଥା ଇଲାସ୍ଟିସିଟି କମିଯାଏ ଏବଂ ହାତ ଓ ପାଦର ଚର୍ମ କୁଞ୍ଚିତ ହୋଇଯାଏ । ନିର୍ଜଳନ ଯୋଗୁ ଚର୍ମ ନୀଳ ହୋଇଯାଏ ଯାହାକୁ ସ୍ୟାନୋସିସ (cyanosis) କୁହାଯାଏ । ଜୀବାଣୁ ପ୍ରବେଶ ପରଠାରୁ ୨ ଘଣ୍ଟାରୁ ୫ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଅନେକ ପ୍ରକାର ଭିବ୍ରିଓ କଲେରି ଜୀବାଣୁର ପ୍ରଜାତିଦ୍ୱାରା କଲେରା ରୋଗ ହୁଏ; କେତେକ ପ୍ରଜାତି ଅନ୍ୟ ପ୍ରଜାତି ଅପେକ୍ଷା ଗମ୍ଭୀର ଧରଣର ରୋଗ କରନ୍ତି । ଅଧିକାଂଶ କ୍ଷେତ୍ରରେ ଜଳ ଓ ଖାଦ୍ୟରେ ଜୀବାଣୁ ମିଶ୍ରିତ ମଳ ଅପମିଶ୍ରିତ ଥିଲେ ଏହି ରୋଗ ବ୍ୟାପେ । ଉତ୍ତମରୁପେ ରନ୍ଧାଯାଇନଥିବା ସାମୁଦ୍ରିକ ଖାଦ୍ୟ ଏହି ରୋଗର ସାଧାରଣ ଉତ୍ସ । ମାନବ ଏକମାତ୍ର ପ୍ରାଣୀ ଯାହାକୁ ଏହି ରୋଗ ହୁଏ । ଅପରିଚ୍ଛନତା, ଅଶୁଦ୍ଧ ପାନୀୟ ଜଳ ଓ ଦାରିଦ୍ର୍ୟ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ମଳ ପରୀକ୍ଷା କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ଶୀଘ୍ର ନିର୍ଣ୍ଣୟ ନିମନ୍ତେ ଡିପସ୍ଟକ ପରୀକ୍ଷା ମିଳୁଛି କିନ୍ତୁ ଏହା ସଠିକ ନୁହେଁ । ଉନ୍ନତ ପରିଚ୍ଛନ୍ନତା ଓ ବିଶୁଦ୍ଧ ଜଳ ଯୋଗାଣଦ୍ୱାରା ଏହି ରୋଗ ପ୍ରତିରୋଧ କରାଯାଇପାରିବ । କଲେରା ଟିକା ପାଟିରେ ଦିଆହୋଇଥିଲେ ପ୍ରାୟ ୬ମାସ ଧରି ସୁରକ୍ଷା ଦିଏ । ଏହାଦ୍ୱାରା ତରଳ ଝାଡ଼ା କରାଉଥିବା ଅନ୍ୟ ଏକ ଜୀବାଣୁ ଇ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗଜପତି ବୀରକିଶୋର ଦେବ (୨ ଜୁଲାଇ ୧୯୨୯ - ୮ ଜୁଲାଇ ୧୯୭୦) ପୁରୀର ଗଜପତି ମହାରାଜା ଥିଲେ । ସେ ଓଡ଼ିଶା ରାଜନୀତିରେ ଜନ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ବୀରକିଶୋର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖୋର୍ଦ୍ଧା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭାରତୀୟ ସର୍ବୋଚ୍ଚ ନ୍ୟାୟାଳୟ, ଭାରତର ଉଚ୍ଚତମ ନ୍ୟାୟିକ ଅନୁଷ୍ଠାନ ଅଟେ ଏବଂ ଭାରତୀୟ ସମ୍ବିଧାନ ଅଧୀନସ୍ଥ ସର୍ବୋଚ୍ଚ ନ୍ୟାୟାଳୟ ଅଟେ । ଏହା ସର୍ବ ବରିଷ୍ଠ ସାମ୍ବିଧାନିକ ନ୍ୟାୟାଳୟ ଅଟେ ଏବଂ ଏହି ନ୍ୟାୟିକ ପୁନରାବଲୋକନର କ୍ଷମତା ରହିଛି । ଭାରତର ମୁଖ୍ୟ ବିଚାରପତି ଏହାର ମୁଖ୍ୟ ଅଟନ୍ତି । ତତ୍ସହିତ ଏଥିରେ ସର୍ବାଧିକ ୩୪ ଜଣ ବିଚାରପତି ଅଛନ୍ତି । ମୁଖ୍ୟ, ଅପିଲୀୟ ତଥା ପରାମର୍ଶିକ ଆଦି ଅଧିକାରକ୍ଷେତ୍ର ମାଧ୍ୟମରେ ଏହାର ବିସ୍ତୃତ କ୍ଷମତା ରହିଛି । ଏହା ଭାରତରେ ସବୁଠାରୁ ଶକ୍ତିଶାଳୀ ଲୋକାନୁଷ୍ଠାନ ବୋଲି ଧରାଯାଇଅଛି ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଟ୍ରାନ୍ସଫର୍ମର ହେଉଛି ଏକ ଯନ୍ତ୍ର, ଯାହାକି ଚୁମ୍ବକୀୟ କ୍ଷେତ୍ରର ସାହାୟତାରେ ଗୋଟିଏ ଭୋଲଟେଜ୍ ଲେବଲ୍ (Voltage level)ରେ ଥିବା ବୈଦୁତିକ ଶକ୍ତି (AC)କୁ ଅନ୍ୟ ଏକ ଭୋଲଟେଜ୍ ଲେବଲ୍ରେ ଥିବା ବୈଦୁତିକ ଶକ୍ତି (AC)କୁ ପରିବର୍ତ୍ତନ କରିଥାଏ । ଏହାର ଦୁଇ କିମ୍ବା ତତୋଽଧିକ କଏଲ୍(Coil) ଥାଏ ଯାହାକି ଏକ ସାଧାରଣ ଫେରୋ-ମ୍ୟାଗ୍ନେଟିକ୍ କୋର୍ (Ferromagnetic Core) ଚାରିପଟେ ଗୁଡା ହୋଇ ରହିଥାଏ । ଏହି କଏଲ୍ଗୁଡ଼ିକ (ସାଧାରଣତଃ) ସିଧାସଳଖ ଯୋଡ଼ା ଯାଇ ନଥାଏ । କଏଲଗୁଡ଼ିକ ଭିତରେ ଏକ ମାତ୍ର ଯୋଡେଇ ହେଲା କୋର୍ ଭିତରେ ଥିବା ସାଧାରଣ ଚୁମ୍ବକୀୟ ଫ୍ଲକ୍ସ୍ (common magnetic flux) ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି Akash Das Nayak ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ସଂସ୍କୃତ (, संस्कृत-, saṃskṛta-, ସାଧାରଣତଃ संस्कृतम्, saṃskṛitam) ବିଶ୍ବର ଏକ ପୁରାତନ ତଥା ଭାରତରେ ପ୍ରଚଳିତ ଏକ ଶାସ୍ତ୍ରୀୟ ଭାଷା । ଏହା ଭାରୋପୀୟ ଭାଷା ପରିବାରର ଏକ ଆର୍ଯ୍ୟ ଭାଷା । ଏହାର ପୂର୍ବବର୍ତ୍ତୀ ଭାଷାଗୁଡ଼ିକ ପ୍ରାକ୍ତନ ତାମ୍ର ଯୁଗରେ ଉତ୍ତର-ପଶ୍ଚିମରୁ ବିସ୍ତାର ଲାଭ କଲାପରେ ଏହା ଦକ୍ଷିଣ ଏସିଆରେ ବ୍ୟାପୀଥିଲା । ସଂସ୍କୃତ ହିନ୍ଦୁ ଧର୍ମର ପବିତ୍ର ଭାଷା ଓ ଶାସ୍ତ୍ରୀୟ ହିନ୍ଦୁ ଦର୍ଶନ ଶାସ୍ତ୍ରରେ, ବୌଦ୍ଧ ଏବଂ ଜୈନ ଧର୍ମର ଐତିହାସିକ ପାଠ୍ୟରେ ବ୍ୟବହାର ହୋଇଥିଲା । ଏହା ପ୍ରାଚୀନ ଏବଂ ମଧ୍ୟଯୁଗୀୟ ଦକ୍ଷିଣ ଏସିଆରେ ଏକ ସଂଯୋଗ ଭାଷା ଥିଲା ଏବଂ ପ୍ରାରମ୍ଭିକ ମଧ୍ୟଯୁଗୀୟ ଯୁଗରେ ଦକ୍ଷିଣ ପୂର୍ବ ଏସିଆ, ପୂର୍ବ ଏସିଆ ଏବଂ ମଧ୍ୟ ଏସିଆକୁ ହିନ୍ଦୁ ଏବଂ ବୌଦ୍ଧ ସଂସ୍କୃତି ବ୍ୟାପିବା ପରେ ଏହା ଧର୍ମ ଏବଂ ଉଚ୍ଚ ସଂସ୍କୃତିର ଭାଷା ଏବଂ ଏହି କ୍ଷେତ୍ରରେ ରାଜନୈତିକ ଉଚ୍ଚବର୍ଗଙ୍କ ଭାଷାରେ ପରିଣତ ହୋଇଥିଲା । ଫଳରେ ବିଶେଷ କରି ବିଭିନ୍ନ ଦକ୍ଷିଣ ଏସିଆ, ଦକ୍ଷିଣପୂର୍ବ ଏସିଆ ଏବଂ ପୂର୍ବ ଏସିଆର ଭାଷାଗୁଡ଼ିକର ଔପଚାରିକ ଏବଂ ପରିବର୍ତ୍ତିତ ଶବ୍ଦାବଳୀ ଉପରେ ସଂସ୍କୃତ ସ୍ଥାୟୀ ପ୍ରଭାବ ପକାଇଥିଲା । ସଂସ୍କୃତ ସାଧାରଣତଃ ଅନେକ ପୁରୁଣା ଇଣ୍ଡୋ-ଆର୍ଯ୍ୟ ଭାଷା ପ୍ରକାରକୁ ସୂଚାଏ । ଏହାର ସବୁଠାରୁ ପୁରୁଣା ହେଉଛି ଋକବେଦରେ ମିଳୁଥିବା ବୈଦିକ ସଂସ୍କୃତ । ତାହା ଖ୍ରୀ.ପୂ. ୧୫୦୦ ମସିହାରୁ ଖ୍ରୀ.ପୂ. ୧୨୦୦ ମସିହା ମଧ୍ୟରେ ରଚନା କରାଯାଇଥିବା ୧,୦୨୮ଟି ଶ୍ଳୋକକୁ ନେଇ ଗଠିତ ଓ ଏସବୁକୁ ବର୍ତ୍ତମାନର ଉତ୍ତର ପାକିସ୍ତାନ ଓ ଆଫଗାନିସ୍ତାନରୁ ଉତ୍ତର ଭାରତର ଆଡ଼କୁ ପୂର୍ବମୁଖୀ ହୋଇ ପ୍ରବାସ କରୁଥିବା ଇଣ୍ଡୋ-ଆର୍ଯ୍ୟ ଜନଜାତିମାନେ ରଚନା କରିଥିଲେ । ବୈଦିକ ସଂସ୍କୃତ ଭାରତୀୟ ଉପମହାଦେଶର ପୂର୍ବବର୍ତ୍ତୀ ପ୍ରାଚୀନ ଭାଷାମାନଙ୍କ ସହ ଆଦାନ ପ୍ରଦାନ କରିବା ବେଳେ ପ୍ରଥମ କରି ଭେଟିଥିବା ଗଛ ଏବଂ ପଶୁମାନଙ୍କ ନାମ ମଧ୍ୟ ଆହରଣ କରିଥିଲା । ଏହା ବ୍ୟତୀତ ପ୍ରାଚୀନ ଦ୍ରାବିଡ଼ ଭାଷାଗୋଷ୍ଠୀ ସଂସ୍କୃତର ଧ୍ୱନିବିଜ୍ଞାନ ଏବଂ ଗଠନକୁ ପ୍ରଭାବିତ କରିଥିଲେ । "ସଂସ୍କୃତ" ମଧ୍ୟ ଅତି ସାଧାରଣ ଭାବେ ଶାସ୍ତ୍ରୀୟ ସଂସ୍କୃତକୁ ସୂଚାଏ । ଶାସ୍ତ୍ରୀୟ ସଂସ୍କୃତ ଏକ ୧ମ ମସିହାର ମଧ୍ୟଭାଗରେ ଉତ୍ପନ୍ନ ହୋଇଥିବା ଏବଂ ପ୍ରାଚୀନ ବ୍ୟାକରଣଗୁଡ଼ିକ ମଧ୍ୟରେ ସବୁଠାରୁ ବ୍ୟାପକ ଭାବେ ପାଣିନୀଙ୍କ ଅଷ୍ଟାଧ୍ୟାୟୀଦ୍ୱାରା ("ଆଠଟି ଅଧ୍ୟାୟ") ମାନକୀକରଣ ହୋଇଥିଲା । କାଳିଦାସ ସଂସ୍କୃତ ଭାଷାର ସର୍ବଶ୍ରେଷ୍ଠ ନାଟ୍ୟକାର ଓ ସେ ଶାସ୍ତ୍ରୀୟ ସଂସ୍କୃତରେ ଲେଖୁଥିଲେ । ଆଧୁନିକ ଗଣିତର ମୂଳଦୁଆ ପ୍ରଥମେ ଶାସ୍ତ୍ରୀୟ ସଂସ୍କୃତରେ ବର୍ଣ୍ଣନା କରାଯାଇଥିଲା । ତେବେ ସଂସ୍କୃତରେ ରଚିତ ଦୁଇ ପ୍ରମୁଖ ମହାକାବ୍ୟ ମହାଭାରତ ଏବଂ ରାମୟଣ ବିଭିନ୍ନ ମୌଖିକ କାହାଣୀ ବର୍ଣ୍ଣନା ଶୈଳୀରେ ରଚିତ ଓ ଏହି ସଂସ୍କୃତକୁ ମହାକାବ୍ୟ ସଂସ୍କୃତ କୁହାଯାଉଥିଲା । ଏହା ଉତ୍ତର ଭାରତରେ ଖ୍ରୀ.ପୂ.
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ ଭାବେ ଗଜପତି ମହାରାଜାଙ୍କର ସେବା ହେଉଛି ବଂଶାନୁକ୍ରମିକ । ଏହା ଏକା ଏକା ସେବା ସେବା, ଗୋଷ୍ଠୀ ସେବା ନୁହେଁ । ଶ୍ରୀଜଗନ୍ନାଥ ମନ୍ଦିର ସ୍ୱତ୍ୱଲିପିରେ ଏହିସେବାକୁ ଗଜପତି ମହାରାଜା ସେବା ଭାବରେ ଉଲ୍ଲେଖ କରାଯାଇଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଥମ ସେବକ ଭାବେ ଗଜପତି ମହାରାଜା ପ୍ରତ୍ୟହ ଶ୍ରୀମନ୍ଦିରରୁ ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ପ୍ରତିଦିନ ମହାପ୍ରଭୁ (ଜଗନ୍ନାଥ) ବାଡ଼ପହୁଡ଼ ସମୟର ମାଳଚୂଳ, ପଇଡ଼ ଇତ୍ୟାଦି ଏବଂ ମଙ୍ଗଳ ଆଳତି ପ୍ରସାଦ ଚର୍ଚ୍ଚା କର୍ମଚାରୀ ଶ୍ରୀନଅରକୁ ନେଇଥାନ୍ତି । ମହାପ୍ରଭୁଙ୍କ ଅବକାଶ ନୀତି ଜଳ ପ୍ରତିଦିନ ମୂଖପ୍ରଖାଳ ପ୍ରତିହାରୀ ଶ୍ରୀନଅରରେ ଦିଅନ୍ତି । ବଡୁ ମହାପାତ୍ର ପ୍ରତ୍ୟେକ ଧୂପରେ, ପର୍ବପର୍ବାଣି ଦିନମାନଙ୍କରେ ଶ୍ରାଦ୍ଧ ଓ ସ୍ୱନକ୍ଷତ୍ର ଦିବସରେ ଶ୍ରୀମନ୍ଦିରରୁ ଶ୍ରୀନଅରକୁ ତାଟ ଦିଅନ୍ତି । ମହାରାଣୀ ଓ ଜେନାମଣି ଖେଇ ସ୍ୱରୂପ ମହାପ୍ରସାଦ ପାଇଥାନ୍ତି । ଗଜପତି ମହାରାଜା, ମହାରାଣୀ ଏବଂ ଜେନାମଣିଙ୍କ ସ୍ୱନକ୍ଷତ୍ରରେ ଶ୍ରୀମନ୍ଦିରରେ ଅଧିକ ଭୋଗ ହୋଇ ଶ୍ରୀନଅରକୁ ତାଟ ଯାଏ । ପ୍ରତି ଏକାଦଶୀ ତିଥି ନିଶାର୍ଦ୍ଧରେ ଗଜପତିଙ୍କ ଶୁଭକାମନା କରି ଶ୍ରୀମନ୍ଦିର ନୀଳଚକ୍ରଠାରେ ମହାଦୀପ ଉଠେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଅବିନାଶ ସାହୁ (ଜନ୍ମ: ୭ ସେପ୍ଟେମ୍ବର ୧୯୯୦; ଜନ୍ମସ୍ଥାନ: ଡେରଙ୍ଗ, ତାଳଚେର) ଜଣେ ଓଡ଼ିଆ ସମ୍ପାଦକ, କବି, ଚିତ୍ରକର, ଫଟୋଗ୍ରାଫର ଓ ହ୍ୟାଣ୍ଡଲୁମ୍ ଫ୍ୟାଶନ୍ ଡିଜାଇନର୍ । ସେ ୨୦୧୩ ମସିହାରୁ ପ୍ରକାଶିତ ହେଇଆସୁଥିବା ଓଡ଼ିଆ ପତ୍ରିକା ଅୟମାରମ୍ଭ ପତ୍ରିକାର ସମ୍ପାଦକ ଓ ପ୍ରକାଶକ ଅଟନ୍ତି, ଯାହାକି ପୁନଃନାମକରଣ ହୋଇ ସର୍ଜନାର ମଙ୍ଗାଶାଳ - ଅବିକା ଭାବରେ ପ୍ରକାଶିତ ହେଉଛି । ସେ ୨୦୧୯ ମସିହାରୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର ପ୍ରଚାର ପ୍ରସାର ଦିଗରେ ଅନେକ କାର୍ଯ୍ୟ କରୁଛନ୍ତି । ଓଡ଼ିଶାର ହସ୍ତତନ୍ତକୁ ନେଇ ୨୦୨୦ ମସିହାରୁ ଅବିକା କ୍ୟାଲେଣ୍ଡର ପ୍ରସ୍ତୁତ କରୁଛନ୍ତି, ଯାହାକି ଏକ ପ୍ରତିଯୋଗିତା ଦ୍ୱାରା ଏହାର ମଡେଲ୍ ମାନଙ୍କୁ ବାଛିଥାଏ ।
ଉତ୍ତରାଖଣ୍ଡର ରାଜ୍ୟର ଗଡ଼ୱାଲ ଅଞ୍ଚଳରେ ସମୁଦ୍ର ପତ୍ତନରୁ ପ୍ରାୟ ୩୫୮୧ ମିଟର ଉଚ୍ଚ କେଦାର ଉପତ୍ୟକାରେ ପବିତ୍ର ମନ୍ଦାକିନୀ ନଦୀ ତଟରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ମନ୍ଦିର ଅବସ୍ତିତ । ଭଗବାନ ଶିବ ଶ୍ରୀକେଦାରନାଥ ଜ୍ୟୋଲିର୍ଲିଙ୍ଗ ରୂପେ ହିମାଳୟ କୋଳରେ ବିରାଜ ମାନ ହେଇଛନ୍ତି । ହିନ୍ଦୁଶାସ୍ତ୍ର,ପୁରାଣ ଓ ପୁରାତନ ରଚନାମାନଙ୍କରେ ଏହି ଅଞ୍ଚଳକୁ କେଦାରଖଣ୍ଡ ଭାବେ ବର୍ଣ୍ଣନା କରାଯାଇଛି ।
ନବଯୌବନ ବେଶ ଶ୍ରୀଜୀଉମାନେ ଆଷାଢ଼ ଅମାବାସ୍ୟା ତଥା ଉଭା ଅମାବାସ୍ୟା ତିଥିରେ ଧାରଣ କରୁଥିବା ବିଶେଷ ବେଶ ଅଟେ । ସ୍ନାନ ପୂର୍ଣ୍ଣିମାର ସ୍ନାନ ପରେ ଠାକୁରମାନେ ଅଣସର ଘରେ ଯାଇ ରହନ୍ତି । ପନ୍ଦର ଦିନ ଭକ୍ତମାନେ ତାଙ୍କର ଦର୍ଶନ ଲାଭରୁ ବଞ୍ଚିତ ହୁଅନ୍ତି । ଅଣସର ଶେଷରେ ପୁଣି ସେ ଯେଉଁଦିନ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ତାହାକୁ ନବଯୌବନ ଦର୍ଶନ କହନ୍ତି । ଖଡ଼ି ଲାଗି ଓ ବନକଲାଗି ପରେ ମହାପ୍ରଭୁଙ୍କ ପ୍ରତିମା ନୂଆ ପରି ଉଜ୍ଜ୍ୱଳ ଦିଶୁଥିବାରୁ ଏହାକୁ ନବଯୌବନ କୁହାଯାଇଥାଏ । ଏହି ସମୟରେ ମହାପ୍ରଭୁ ରତ୍ନ ସିଂହାସନକୁ ଆଉ ବିଜେ କରନ୍ତି ନାହିଁ । ନବଯୌବନ ଓ ନେତ୍ରୋତ୍ସବ ପରେ ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ଦିନ ରଥଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ବିଜେ କରନ୍ତି । ନବଯୌବନ ଦର୍ଶନ ଲାଭ ସୁଯୋଗକୁ ଶ୍ରଦ୍ଧାଳୁ ଭକ୍ତମାନେ ବର୍ଷ ବ୍ୟାପି ପ୍ରତୀକ୍ଷା କରିଥାଆନ୍ତି । କେତେକ ସମୟରେ ନେତ୍ରୋତ୍ସବ ଓ ନବଯୌବନ ତିଥିରେ ସାମାନ୍ୟ ଏପଟ ସେପଟ ମଧ୍ୟ ହୋଇଥାଏ । ନେତ୍ରୋତ୍ସବର ଅର୍ଥ ହେଲା ମହାପ୍ରଭୁମାନଙ୍କ ଚକ୍ଷୁରେ ନବଯୌବନ ବେଶର ଅନ୍ତିମ ସ୍ପର୍ଶ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କାଳିଜାଇ ମନ୍ଦିର ଓଡ଼ିଶାର ଚିଲିକା ହ୍ରଦର ଏକ ଛୋଟ ଦ୍ୱୀପ ମଧ୍ୟରେ ଅବସ୍ଥିତ। ନୀଳ ଜଳର ଚଦରରେ ଆବୃତ ହୋଇ ଥିବା ଏହି ପବିତ୍ର ସ୍ଥାନ ଓଡ଼ିଶା ପର୍ଯ୍ୟଟନର ଏକ ଐତିହାସିକ କିମ୍ବଦନ୍ତୀ ଭାବେ ଜଣାଶୁଣା। ପ୍ରାୟ ୨୯ ଏକର ପାହାଡରେ ପରିପୂର୍ଣ୍ଣ ଏ ଦ୍ୱୀପରେ ମା’ କାଳିଜାଇ ପୂଜା ପାଉଛନ୍ତି । କାଳିଜାଇ ଚିଲିକାର ଏକ ସ୍ୱତନ୍ତ୍ର ଆକର୍ଷଣ । ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଏଠାକୁ ମା’ଙ୍କ ଦର୍ଶନ ପାଇଁ ଆସିଥନ୍ତି । ମକର ସଂକ୍ରାନ୍ତିରେ କାଳିଜାଇ ପୀଠରେ ପ୍ରସିଦ୍ଧ ମକରମେଳା ଅନୁଷ୍ଠିତ ହୁଏ । ଜାନୁଆରୀ ମାସରେ ପଡୁଥିବା ମକରମେଳା ଏଠାକାର ଏକମାତ୍ର ଲୋକପ୍ରିୟ ପର୍ବ । ଏହି ପର୍ବରେ ଆଖପାଖ ଅଞ୍ଛଳର ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅଲାରନାଥ ମନ୍ଦିର ପୁରୀ ଜିଲ୍ଲାର ବ୍ରହ୍ମଗିରିଠାରେ ଅବସ୍ଥିତ ବିଷ୍ଣୁଙ୍କର ଏକ ମନ୍ଦିର । ପୁରୀର ପବିତ୍ର ନରେନ୍ଦ୍ର ପୁଷ୍କରିଣୀଠାରୁ ବାମପାର୍ଶ୍ୱ ପୁରୀ-ସାତପଡ଼ା ରାସ୍ତାରେଜାତୀୟ ରାଜପଥ-୨୦୩(କ)ରେ ୨୦ କି.ମି ଗଲେ ବ୍ରହ୍ମଗିରି । ପାଞ୍ଚ ଏକର ପରିମିତ ଜାଗାରେ କେତକୀ, ବଉଳ ଓ ନାରିକେଳ ଜଙ୍ଗଲ ପରିବେଶ ମଧ୍ୟରେ ୫୦ଫୁଟ ୫ଇଞ୍ଚ ଉଚ୍ଚତା ବିଶିଷ୍ଟ ଶ୍ରୀଅଲାରନାଥଙ୍କ ମନ୍ଦିର ଅବସ୍ଥିତ । ଏହି ମନ୍ଦିର ଚତୁଃପାର୍ଶ୍ୱରେ ଶ୍ରୀଚୈତନ୍ୟ ମନ୍ଦିର, ଶିବ ମନ୍ଦିର ଓ ବିଭିନ୍ନ ଠାକୁରାଣୀଙ୍କ ମନ୍ଦିର, ନବଗ୍ରହ ପ୍ରସ୍ତର, ନାଟମନ୍ଦିର, ପ୍ରାର୍ଥନା ଗୃହ, ଭୋଗମଣ୍ଡପ, ମୁଖଶାଳା, ତଥା ଯଜ୍ଞ ମଣ୍ଡପ ଅବସ୍ଥିତ । ରଥଯାତ୍ରା ପୂର୍ବରୁ ପ୍ରଥମେ ପଡେ ସ୍ନାନଯାତ୍ରା । ଏହି ମହାସ୍ନାନ ପରେ ଶ୍ରୀଜୀଉମାନେ ଲୌକିକ ମତରେ ଭୀଷଣ ଜ୍ୱରରେ ଆକ୍ରାନ୍ତ ହୋଇ ଅଣସର ଘରେ ପଡ଼ିରହନ୍ତି । ଅଣସରର ତାଳତାଟି ଭିତରେ ମହାପ୍ରଭୁଙ୍କ ବଂଶଧର ଭାବେ ପରିଚିତ ଦଇତାପତି ସେବକମାନେ ସେମାନଙ୍କର ସେବାଶୁଶ୍ରୁଷା କରନ୍ତି । ସେହି ସମୟରେ ଭକ୍ତମାନେ ଦୀର୍ଘ ୧୫ଦିନ ଧରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରନ୍ତି ନାହିଁ । ତେଣୁ ଏହି ସମୟରେ ଭକ୍ତମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିନପାରି ବ୍ରହ୍ମଗିରିର ଶ୍ରୀଅଲାରନାଥଙ୍କୁ ଦର୍ଶନ କରି ପୁଣ୍ୟ ଅର୍ଜନ କରିଥାନ୍ତି । ଶ୍ରୀମନ୍ଦିର ରତ୍ନ ସିଂହାସନରେ ଶ୍ରୀଜୀଉଙ୍କୁ ଦର୍ଶନ କରିବାରେ ଯେତିକି ପୂଣ୍ୟ ମିଳେ ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ ସେତିକି ପୂଣ୍ୟ ମିଳେ ବୋଲି ପ୍ରବାଦ ରହିଛି । ତେଣୁ ଅଣସର ସମୟରେ ଅଲାରନାଥ ମନ୍ଦିରରେ ଭକ୍ତମାନଙ୍କ ପ୍ରବଳ ଭିଡ ଲାଗିରହିଥାଏ । ଏହା କୌଣସି ପର୍ଯ୍ୟଟନସ୍ଥଳୀ ନହେଲେ ବି କୃଷ୍ଣଭକ୍ତମାନଙ୍କ ପାଇଁ ଏକ ପ୍ରସିଦ୍ଧ ସ୍ଥାନ । କାରଣ ଭଗବାନ ଅଲାରନାଥ ହେଉଛନ୍ତି ପ୍ରଭୁ ବିଷ୍ଣୁଙ୍କର ଚଳନ୍ତି ପ୍ରତିମା ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ୨୮ଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
ଉଚ୍ଚ ରକ୍ତଚାପ (ଇଂରାଜୀ ଭାଷାରେ ହାଇପର୍ଟେନ୍ସନ୍ ବା HTN ବା HT) ବା ଧମନୀ ଉଚ୍ଚ ରକ୍ତଚାପ ଏକ ସ୍ଥାୟୀ ଭେଷଜ ରୋଗ ଯେଉଁଥିରେ ରକ୍ତଚାପ ନିରନ୍ତର ବୃଦ୍ଧି ପାଇଥାଏ । ଏହି ରୋଗରେ ସାଧାରଣତଃ କୌଣସି ଲକ୍ଷଣ ପ୍ରକାଶ ପାଏନାହିଁ । ଦୀର୍ଘକାଳୀନ ଉଚ୍ଚ ରକ୍ତଚାପ ରହିଲେ କେତେକ ରୋଗ ସଙ୍କଟ ସୃଷ୍ଟି ହୁଏ ଯଥା:- କରୋନାରୀ ଧମନୀ ରୋଗ, ସ୍ଟ୍ରୋକ୍, ହୃଦ୍ଘାତ, ପ୍ରାନ୍ତୀୟ ରକ୍ତନଳୀ ରୋଗ, ଦୃଷ୍ଟିହାନୀ ଓ କ୍ରନିକ ବୃକ୍କ ରୋଗ । ଏହି ରୋଗଟି ଦୁଇ ଶ୍ରେଣୀରେ ବିଭକ୍ତ କରାଯାଏ ଯଥା:- ପ୍ରାଥମିକ ବା ଅନିବାର୍ଯ୍ୟ ଉଚ୍ଚ ରକ୍ତଚାପ (primary or essential hypertension) ଓ ଗୌଣ ଉଚ୍ଚ ରକ୍ତଚାପ (secondary hypertension) । ଅନିବାର୍ଯ୍ୟ ଉଚ୍ଚ ରକ୍ତଚାପ ୯୦ରୁ ୯୫ % ଲୋକଙ୍କର ଅନିର୍ଦ୍ଦିଷ୍ଟ ଜୀବନଚର୍ଯ୍ୟା ଓ ଜେନେଟିକ କାରଣ ଯୋଗୁ ହୁଏ । ଜୀବନଚର୍ଯ୍ୟା କାରଣ ଯଥା:- ଅତ୍ୟଧିକ ଲୁଣ ଖାଇବା, ଅତ୍ୟଧିକ ଓଜନ ବୃଦ୍ଧି, ଧୂମ୍ରପାନ ଓ ଆଲକୋହୋଲ ସେବନ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ବଳକା ୫ରୁ ୧୦% ରୋଗକୁ ସେକଣ୍ଡାରୀ ବା ଗୌଣ ଉଚ୍ଚ ରକ୍ତଚାପ ନାମିତ କରାଯାଏ ଯାହାର ନିର୍ଦ୍ଦିଷ୍ଟ କାରଣ ଥାଏ ଯେପରିକି କ୍ରନିକ ବୃକ୍କ ରୋଗ, ବୃକ୍କ ଧମନୀ ସ୍ଟେନୋସିସ୍, ଅନ୍ତସ୍ରାବୀ ଗ୍ରନ୍ଥୀ ରୋଗ ଓ ଜନ୍ମ ନିରୋଧ ବଟିକା ସେବନ । ଏହି ବୃଦ୍ଧି ଯୋଗୁ ହୃତ୍ପିଣ୍ଡକୁ ଅଧିକ କାର୍ଯ୍ୟ କରିବାକୁ ପଡ଼ିଥାଏ । ଦୁଇ ପ୍ରକାରର ମାପଦ୍ୱାରା ଉଚ୍ଚ ରକ୍ତଚାପ ଲେଖାଯାଏ, ଗୋଟିଏ ସିସ୍ଟୋଲିକ (ହୃତ୍ପିଣ୍ଡ ସଙ୍କୋଚନ ବେଳର ସର୍ବୋଚ୍ଚ) ଓ ଅନ୍ୟଟି ଡାୟାସ୍ଟୋଲିକ (ହୃତ୍ପିଣ୍ଡ ଶୀଥିଳ ବେଳର ସର୍ବନିମ୍ନ) । ବିଶ୍ରାମ ସମୟରେ ଗୋଟିଏ ସୁସ୍ଥ ଲୋକର ସିସ୍ଟୋଲିକ ଚାପ ୧୦୦ରୁ ୧୪୦ ମି.ମି.
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
କେଦାରନାଥ, ଉତ୍ତରାଖଣ୍ଡ ରାଜ୍ୟର ପ୍ରମୂଖ ସହର ତଥା ଏକ ଧାର୍ମିକ ଯାତ୍ରାଧାମ । ଏହା ପ୍ରମୁଖ ଚାରଧାମ ମଧ୍ୟରୁ ଗୋଟିଏ ଧାମ । ଏଠାକୁ ପହଞ୍ଚିବାକୁ କୌଣସି ସଡକ ସୁବିଧା କିମ୍ବା ରେଳରାସ୍ତା ନାହିଁ । ୧୪କି ମି ଦୁର୍ଗମ ରାସ୍ତା ଚାଲିବାକୁ ପଡ଼ିଥାଏ । ଶୀତ ଛଅ ମାସ ଏହି ମନ୍ଦିର ବନ୍ଦ ରୁହେ ଓ ଭଗବାନ ଶିବଙ୍କୁ (କେଦାରନାଥ) ଉଖି ମଠରେ ପୂଜା କରାଯାଇଥାଏ । ପ୍ରତିବର୍ଷ ଅକ୍ଷୟ ତୃତୀୟାରେ ଭଗବାନଙ୍କୁ ଉଖି ମଠରୁ କେଦାରନାଥ ଅଣାଯାଇଥାଏ । ସେହିଦିନ କେଦାରନାଥ ମନ୍ଦିର ଖୋଲେ ଏବଂ ଗ୍ରୀଷ୍ମ ଛଅ ମାସ ଭଗବାନ ସେଠାରେ ପୂଜା ପାଇଥାନ୍ତି । ଉଖି ମଠ ରୁଦ୍ରପ୍ରୟାଗରୁ ୪୧ କି ମି ଦୂରରେ ଅବସ୍ଥିତ ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଛତିଶଗଡ଼ ଉଚ୍ଚ ନ୍ୟାୟାଳୟ ହେଉଛି ଭାରତର ଛତିଶଗଡ଼ ରାଜ୍ୟର ରାଜ୍ୟସ୍ତରୀୟ ସର୍ବୋଚ୍ଚ ନ୍ୟାୟାଳୟ । ଏହା ଛତିଶଗଡ଼ ରାଜ୍ୟର ବିଳାସପୁର ଜିଲ୍ଲାର ବୋଦ୍ରି ଗାଁରେ ଅବସ୍ଥିତ । ଏହା ୧ ନଭେମ୍ବର ୨୦୦୦ ତାରିଖରେ ମଧ୍ୟ ପ୍ରଦେଶ ରାଜ୍ୟ ପୁନର୍ଗଠନ ପରେ ନୂତନ ଛତିଶଗଡ଼ ରାଜ୍ୟ ଗଠନ ସହିତ ସ୍ଥାପିତ ହୋଇଥିଲା । ବିଳାସପୁରର ଏହି ଉଚ୍ଚ ନ୍ୟାୟାଳୟ ଭାରତର ୧୯ତମ ଉଚ୍ଚ ନ୍ୟାୟାଳୟ ଅଟେ । ନ୍ୟାୟମୂର୍ତ୍ତି ଆର୍. ଏସ୍.
ଟୁଇଟର () ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୂଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ମେନିଞ୍ଜାଇଟିସ ଏକ ରୋଗ ଯାହା ମସ୍ତିଷ୍କ ଓ ମେରୁଦଣ୍ଡର ସୁରକ୍ଷାକାରୀ ଆବରଣ ମେନିଞ୍ଜେସର ପ୍ରଦାହକୁ କୁହାଯାଏ । ଜ୍ୱର, ମୁଣ୍ଡବଥା ଓ ଦୃଢ଼଼ ବେକ ଆଦି ଲକ୍ଷଣ ଏହି ରୋଗରେ ଦେଖାଯାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଦ୍ୱନ୍ଦ୍ୱ ଓ ପରିବର୍ତ୍ତିତ ଚେତନା, ବାନ୍ତି ଓ ଆଲୋକ ଭୀତି ବା ଶବ୍ଦ ଭୀତି ମଧ୍ୟ ପ୍ରକାଶ ପାଏ । ଅଳ୍ପ ବୟସ୍କ ପିଲାମାନଙ୍କର ଅନିର୍ଦ୍ଦିଷ୍ଟ ଲକ୍ଷଣ ଯେପରିକି ଚିଡ଼ିଚିଡ଼ା ଭାବ, ଢୁଳ ଲାଗିବା ଓ କମ୍ ଖାଇବା ଆଦି ଦେଖାଯାଏ । ମେନିଙ୍ଗୋକୋକାଲ ମେନିଞ୍ଜାଇଟିସ ହୋଇଥିଲେ ଏକ ନିର୍ଦ୍ଦିଷ୍ଟ ଧରଣର ରାସ୍ ଦେଖାଯାଏ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡ଼ିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀମାନେ କମ୍ପ୍ୟୁଟର ସହିତ ଜଡ଼ିତ ଥିବା ତତ୍ତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଗ୍ରେଟ୍ ବ୍ରିଟେନ୍ ଓ ଉତ୍ତର ଆୟାର୍ଲ୍ଯାଣ୍ଡ୍ର ଯୁକ୍ତରାଜ୍ୟ, ବା ସାଧାରଣ ଭାବେ ଯୁକ୍ତରାଜ୍ୟ ଇଉରୋପୀୟ ମୂଳ ଭୂଖଣ୍ଡର ପଶ୍ଚିମ ଉପକୂଳରେ ଅବସ୍ଥିତ ଏକ ସାର୍ବଭୌମ ରାଷ୍ଟ୍ର ବା ରାଷ୍ଟ୍ରସଂଘ । ଯୁକ୍ତରାଜ୍ୟ ମଧ୍ୟରେ ଗ୍ରେଟ ବ୍ରିଟେନ ଦ୍ୱୀପ, ଆୟରଲ୍ୟାଣ୍ଡ ଦ୍ୱୀପର ଉତ୍ତରପୂର୍ବ ଭାଗ ଏବଂ ଅନେକ ଛୋଟ ଦ୍ୱୀପ ଅନ୍ତର୍ଭୁକ୍ତ । ଉତ୍ତର ଆୟରଲ୍ୟାଣ୍ଡ୍ ଓ ଆୟରଲ୍ୟାାଣ୍ଡ୍ ସାଧାରଣତନ୍ତ୍ର ମଝିରେ ସ୍ଥଳ ସୀମା ରହିଛି । ଏହାଛଡ଼ା ଯୁକ୍ତରାଜ୍ୟକୁ ଆଟଲାଣ୍ଟିକ ମହାସାଗର ଘେରିରହିଛି । ଏହାର ପୂର୍ବରେ ଉତ୍ତର ସମୁଦ୍ର, ଦକ୍ଷିଣରେ ଇଂରାଜୀ ପ୍ରଣାଳୀ ଏବଂ ଦକ୍ଷିଣ-ପଶ୍ଚିମରେ କେଲଟିକ ସାଗର ରହିଛି । ଏହାର ବେଳା ବିଶ୍ୱର ୧୨ତମ ଦୀର୍ଘ ଉପକୂଳ । ଆଇରିସ ସାଗର ଗ୍ରେଟ ବ୍ରିଟେନ ଏବଂ ଆୟରଲ୍ୟାଣ୍ଡକୁ ଅଲଗା କରିଥାଏ । ଯୁକ୍ତରାଜ୍ୟର ମୋଟ କ୍ଷେତ୍ରଫଳ ୨,୪୦,୦୦୦ ବର୍ଗ କି.ମି.
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ମୟୂରଭଞ୍ଜର ବିଭିନ୍ନ କଳା ଓ ସଂସ୍କୃତି ମଧ୍ୟରେ ଗଞ୍ଜାକୁକୁଡ଼ା ଲଢ଼େଇ ଅନ୍ୟତମ । ସାଧାରଣତଃ ଉତ୍ତର ଓଡ଼ିଶାର ବଣଜଙ୍ଗଲ ଘେରା ଆଦିବାସୀ ଇଲାକାରେ ଶୀତଦିନେ ଆରମ୍ଭ ହୋଇଯାଏ କୁକୁଡ଼ା ଲଢ଼େଇ । ଏହି ସବୁ ଅଞ୍ଚଳରେ ପ୍ରାୟତଃ ସବୁ ସାପ୍ତାହିକ ହାଟରେ ଗଞ୍ଜା ଲଢେଇ ପାଇଁ ପାଳା (କ୍ଷେତ୍ର) ପ୍ରସ୍ତୁତ ହୋଇଥାଏ । ଏହା ବ୍ୟତୀତ ବାର୍ଷିକ ଖେଳକୁଦ ସମାରୋହ, ପର୍ବପର୍ବାଣିରେ ଅନୁଷ୍ଠିତ ମେଳାରେ କୁକୁଡ଼ା ଲଢ଼େଇ ପ୍ରତିଯୋଗିତା ଆୟୋଯିତ ହୋଇଥାଏ । ବିଭିନ୍ନ ଅଞ୍ଚଳରୁ ଆସିଥିବା ହଜାର ହଜାର କୁକୁଡ଼ା ସହ ମାଲିକମାନେ ଏହି ପ୍ରତିଯୋଗିତାରେ ସାମିଲ ହୋଇଥାନ୍ତି । ଅନେକ ଦର୍ଶକ ଗଞ୍ଜା ଲଢ଼େଇରେ ବାଜି ଲଗେଇବାକୁ ଭିଡ଼ କରିଥାନ୍ତି । ଏଥିପାଇଁ ପାଳା ପାଖରେ ହାଣ୍ଡିଆ ହାଟ ବସେ, ହାଣ୍ଡିଆ ପିଇ ନିଶାଗ୍ରସ୍ତ ଲୋକ କୁକୁଡ଼ା ଓ ବାଜି ଖେଳରେ ସର୍ବସ୍ୱ ହରାଇଥାନ୍ତି । ଲଢ଼େଇରେ ଭାଗ ନେଉଥିବା ଗଞ୍ଜାଗୁଡ଼ିକ ପ୍ରାୟ ହନ୍ସିଲ ଓ ହାଜରା ଜାତିର ହୋଇଥାଏ । ଲଢୁଆ କୁକୁଡା ଗୁଡିକର ଦାମ ସାଧାରଣ କୁକୁଡା ଅପେକ୍ଷା ୩ରୁ ୪ ଗୁଣ ଅଧିକ ହୋଇଥାଏ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀଦ୍ୱାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।