ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କଲେରା ମାନବ କ୍ଷୁଦ୍ର ଅନ୍ତନଳୀରେ ଜୀବାଣୁ ଭିବ୍ରିଓ କଲେରିର କେତେକ ପ୍ରଜାତିଦ୍ୱାରା ହେଉଥିବା ରୋଗର ନାମ । ଓଡ଼ିଆରେ ଏହାକୁ ବିସୂଚିକା, ଓଲାଉଠା, ମହାମାରୀ ଓ ହଇଜା ନାମ ମଧ୍ୟ ଦିଆଯାଇଛି । ଏହାର ଲକ୍ଷଣ: ସାମାନ୍ୟରୁ ଗମ୍ଭୀର ଧରଣର ହୋଇପାରେ, କିଛି ବି ନ ହୋଇପାରେ । ସ୍ୱାଭାବିକ ଲକ୍ଷଣ ମଧ୍ୟରେ ବହୁତ ପରିମାଣର ପାଣିଭଳି ତରଳ ଝାଡ଼ା କିଛି ଦିନ ହୁଏ । ବାନ୍ତି ଓ ମାଂସପେଶୀ କ୍ରାମ୍ପ ହୋଇପାରେ । ଅତ୍ୟଧିକ ତରଳ ଝାଡ଼ା ହେଲେ କିଛି ଘଣ୍ଟା ମଧ୍ୟରେ ଗମ୍ଭୀର ନିର୍ଜଳନ ଓ ଇଲେକ୍ଟ୍ରୋଲାଇଟ ଅସନ୍ତୁଳନ ହୁଏ । ଏହାଦ୍ୱାରା ଆଖି କୋଟରଗତ ହୁଏ, ଚର୍ମ ଥଣ୍ଡା ହୁଏ ତଥା ଇଲାସ୍ଟିସିଟି କମିଯାଏ ଏବଂ ହାତ ଓ ପାଦର ଚର୍ମ କୁଞ୍ଚିତ ହୋଇଯାଏ । ନିର୍ଜଳନ ଯୋଗୁ ଚର୍ମ ନୀଳ ହୋଇଯାଏ ଯାହାକୁ ସ୍ୟାନୋସିସ (cyanosis) କୁହାଯାଏ । ଜୀବାଣୁ ପ୍ରବେଶ ପରଠାରୁ ୨ ଘଣ୍ଟାରୁ ୫ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଅନେକ ପ୍ରକାର ଭିବ୍ରିଓ କଲେରି ଜୀବାଣୁର ପ୍ରଜାତିଦ୍ୱାରା କଲେରା ରୋଗ ହୁଏ; କେତେକ ପ୍ରଜାତି ଅନ୍ୟ ପ୍ରଜାତି ଅପେକ୍ଷା ଗମ୍ଭୀର ଧରଣର ରୋଗ କରନ୍ତି । ଅଧିକାଂଶ କ୍ଷେତ୍ରରେ ଜଳ ଓ ଖାଦ୍ୟରେ ଜୀବାଣୁ ମିଶ୍ରିତ ମଳ ଅପମିଶ୍ରିତ ଥିଲେ ଏହି ରୋଗ ବ୍ୟାପେ । ଉତ୍ତମରୁପେ ରନ୍ଧାଯାଇନଥିବା ସାମୁଦ୍ରିକ ଖାଦ୍ୟ ଏହି ରୋଗର ସାଧାରଣ ଉତ୍ସ । ମାନବ ଏକମାତ୍ର ପ୍ରାଣୀ ଯାହାକୁ ଏହି ରୋଗ ହୁଏ । ଅପରିଚ୍ଛନତା, ଅଶୁଦ୍ଧ ପାନୀୟ ଜଳ ଓ ଦାରିଦ୍ର୍ୟ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ମଳ ପରୀକ୍ଷା କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ଶୀଘ୍ର ନିର୍ଣ୍ଣୟ ନିମନ୍ତେ ଡିପସ୍ଟକ ପରୀକ୍ଷା ମିଳୁଛି କିନ୍ତୁ ଏହା ସଠିକ ନୁହେଁ । ଉନ୍ନତ ପରିଚ୍ଛନ୍ନତା ଓ ବିଶୁଦ୍ଧ ଜଳ ଯୋଗାଣଦ୍ୱାରା ଏହି ରୋଗ ପ୍ରତିରୋଧ କରାଯାଇପାରିବ । କଲେରା ଟିକା ପାଟିରେ ଦିଆହୋଇଥିଲେ ପ୍ରାୟ ୬ମାସ ଧରି ସୁରକ୍ଷା ଦିଏ । ଏହାଦ୍ୱାରା ତରଳ ଝାଡ଼ା କରାଉଥିବା ଅନ୍ୟ ଏକ ଜୀବାଣୁ ଇ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ଯୋଗ (ଇଂରାଜୀ:Yoga (; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ତରଳ ଝାଡ଼ା (ଇଂରାଜୀରେ Diarrhea କିମ୍ବା diarrhoea) ରୋଗର ସଂଜ୍ଞା ଅନୁସାରେ ପ୍ରତ୍ୟେକ ଦିନ ଅତି କମ୍ରେ ତିନି ଥର ତରଳ ଝାଡ଼ା ହେବା ଆବଶ୍ୟକ । ଏହା ସାଧାରଣତଃ କିଛି ଦିନ ନିମନ୍ତେ ରହିପାରେ, ଫଳରେ ଦେହର ଜଳୀୟ ଅଂଶ ହ୍ରାସ (ନିର୍ଜଳନ) ହୁଏ । ଚର୍ମର ଇଲାସ୍ଟିସିଟି କମିଯିବା ଓ ରୋଗିର ବ୍ୟକ୍ତିତ୍ୱ ପରିବର୍ତ୍ତନ ହେଉଛି ନିର୍ଜଳନର ଚିହ୍ନ । ପରିସ୍ରା ପରିମାଣ କମିଯାଏ, ଚର୍ମ ଶେତା ଦେଖାଯାଏ, ନାଡ଼ି ଦୃତ ହୁଏ ଓ ଗମ୍ଭୀର ଅବସ୍ଥା ହେଲେ ଚେତନ ଅବସ୍ଥା କମେ ତଥା ସମ୍ବେଦନହୀନ ହୁଏ । ପାଣିଆ ଝାଡ଼ା ସ୍ତନ୍ୟପାନ କରୁଥିବା ପିଲାଙ୍କର ଝାଡ଼ା ପତଳା ହେଲେ ମଧ୍ୟ ତାହା ସାଧାରଣ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କବିକଳହଂସ ଗୋପାଳକୃଷ୍ଣ ପଟ୍ଟନାୟକ (୧୭୮୪ - ୧୮୬୨) ଅଷ୍ଟାଦଶ ଶତାବ୍ଦୀର ଜଣେ ପ୍ରଖ୍ୟାତ ଓଡ଼ିଶୀ ସଙ୍ଗୀତକାର କବି । ସେ ପ୍ରାଚୀନ ଉତ୍କଳୀୟ ସଙ୍ଗୀତ ଅନୁସରଣରେ ବହୁସଂଖ୍ୟକ ଓଡ଼ିଶୀ ପ୍ରବନ୍ଧ, ଛାନ୍ଦ, ଚଉତିଶା, ଭଜନ ଓ ଜଣାଣ, କୋଇଲି, ଚଉତିଶା ଆଦି ରଚନା କରିଛନ୍ତି । 'ଉଠିଲୁ ଏଡ଼େ ବେଗି କାହିଁକି ରେ', 'ଅନୁସରିତ ପ୍ରଭୋ କାଳଯାକ ଗଲା ସରିତ', 'ସଙ୍ଗିନୀରେ ରାସ ରଙ୍ଗିନୀରେ' ଇତ୍ୟାଦି ଗୋପାଳକୃଷ୍ଣଙ୍କ ଅସଂଖ୍ୟ ଗୀତଗୁଡ଼ିକ ଅଦ୍ୟାବଧି ଓଡ଼ିଶାର ଗ୍ରାମେ ଗ୍ରାମେ ଲୋକମୁଖରେ ଶୁଣାଯାଏ । ତାଙ୍କ କବିତାଗୁଡ଼ିକ ସଂଗୃହିତ ହୋଇ ରଚନାବଳୀ ବା ଗ୍ରନ୍ଥାବଳୀ ଭାବେ ଅନେକବାର ପ୍ରକାଶିତ ହୋଇଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଟିକେ ଅନାଡ଼ି ପୂରା ଖିଲାଡ଼ି, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରବିନ୍ ନନ୍ଦ । ଅଜୟ ସାମଲ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଲୋକନାଥ ବାରିକ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଗ୍ନିରାଜ କିଶୋର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ସିକ୍ଲ ସେଲ୍ ରୋଗ (ଏସସିଡି), ଅନ୍ୟ ନାମ ସିକ୍ଲ ସେଲ୍ ଆନିମିଆ (ଏସସିଏ), ଏକ ରକ୍ତ ବେମାରୀ ଦଳ ଯାହା ଯାହା ବଂଶାନୁକ୍ରମେ ପ୍ରେରିତ ହୁଏ । ଫଳରେ ଲୋହିତ ରକ୍ତ କଣିକାରେ ଥିବା ଅମ୍ଳଜାନ ବାହକ ପ୍ରୋଟିନ ହେମୋଗ୍ଲୋବିନ ଅସାମାନ୍ୟ ହୋଇଯାଏ । ଏହାଦ୍ୱାରା ରକ୍ତ କଣିକା କେତେକ ପରିସ୍ଥିତିରେ ଏକ ଦାଆ ଆକାର ଧାରଣ କରେ । ଏହି ରୋଗ ୫ରୁ ୬ମାସ ବୟସରେ ଆରମ୍ଭ ହୁଏ । ଅନେକ ସ୍ୱାସ୍ଥ୍ୟ ସମସ୍ୟା ଏହା ଯୋଗୁ ଉତ୍ପନ୍ନ ହୁଏ ଯଥା:- ଯନ୍ତ୍ରଣା ଆକ୍ରମଣ (ସିକ୍ଲ ସେଲ୍ କ୍ରାଇସିସ୍), ଆନିମିଆ, ଜୀବାଣୁ ସଂକ୍ରମଣ ଓ ସ୍ଟ୍ରୋକ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ କ୍ରନିକ ଯନ୍ତ୍ରଣା ଲାଗିରହେ । ବିକଶିତ ଦେଶରେ ଏହି ରୋଗୀର ହାରାହାରି ଆୟୁଷ ପ୍ରାୟ ୫୦ ବର୍ଷ ।
ଶ୍ରୀ ହରମନ୍ଦିର ସାହିବ (ବସ୍ତୁତ୍, "ଭଗବାନଙ୍କ ନିବାସ"), ଏହା ଗୋଲଡେନ ଟେମ୍ପଲ ନାମରେ ପ୍ରସିଦ୍ଧ ଏବଂ ପବିତ୍ର ଗୁରୁଦ୍ୱାରା ଦରବାର ସାହିବ ରୂପେ ପରିଚିତ । ଏହା ଶିଖ ଧର୍ମର ମହତ୍ୱପୁର୍ଣ ଧର୍ମସ୍ଥଳ ଅଟେ । ଓ ଭାରତର ପଞ୍ଜାବ ରାଜ୍ୟର ଅମୃତସର ସହରରେ ଉପସ୍ଥିତ । ଏହି ମନ୍ଦିର ମନୁଷ୍ୟଙ୍କ ହାତରେ ବନିଥିବା ଏକ ଜଳାଶୟ (ସରୋବର)ର ଚାରି ପାର୍ଶ୍ୱରେ ନିର୍ମିତ ଯାହା କି ଗୁରୁ ରାମ ଦାସଙ୍କଦ୍ୱାରା ୧୫୭୭ ମସିହାରେ ସମାପ୍ତ କରା ଯାଇଥିଲା । ୧୫୮୯ରେ ଶିଖ ଧର୍ମର ପଞ୍ଚମ ଗୁରୁ - ଗୁରୁ ଅର୍ଜନ, ଲାହୋରର ଏକ ମୁସଲିମ ପିର ସାଇ ମିଲନ ମୀରଙ୍କୁ ଅନୁରୋଧ କରି ଏହାର ନିୟ ପ୍ରସ୍ଥର ସ୍ଥାପନା କରିଥିଲେ. ୧୬୦୪ ମସିହାରେ ଗୁରୁ ଅର୍ଜନ ଆଦି ଗ୍ରଂଥର ଏକ ପ୍ରତିଲିପି ହରମନ୍ଦିର ସାହିବରେ ସ୍ଥାପନ କରିଥିଲେ, ଏହା ଅଥ ସଥ ତୀରଥ (ବସ୍ତୁତ୍ୱ. ''୬୮ ତୀର୍ଥଯାତ୍ରାର ମନ୍ଦିର'').
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଆନ୍ତର୍ଜାତିକ ଯୋଗ ଦିବସ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ ହୁଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା । ଅଳ୍ପ କେତୋଟି ମୁସଲିମ ରାଷ୍ଟ୍ରକୁ ବାଦ ଦେଲେ ପ୍ରାୟ ସମସ୍ତ ଦେଶ ଏହାକୁ ପାଳନ ଲାଗି ସମର୍ଥନ କରିଥିଲେ । ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ । । ପ୍ରାୟ ୬୦୦୦ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବାର ଅନୁମାନ କରାଯାଏ । ଯୋଗଦ୍ୱାରା ସ୍ୱାସ୍ଥ୍ୟଗତ ଲାଭ ସମସ୍ତେ ନେବା ଓ ଏହାକୁ ଦୈନିକ ନିଜ ଦିନଚର୍ଯାରେ ଅଂଶିଭୂତ ପାଇଁ ଅନୁରୋଧ କରିବା ସହ ଭାରତ ଏହାକୁ ନିଜର ବୌଦ୍ଧିକ ସମ୍ପତି ଦାବୀ କରେନାହିଁ ବୋଲି ସ୍ପଷ୍ଟୋକ୍ତି ଦେଇଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ନିମାଇଁ ଚରଣ ହରିଚନ୍ଦନ (୧୯୦୧-୧୯୮୩) ଜଣେ ଭାରତୀୟ କଣ୍ଠଶୀଳ୍ପି ଥିଲେ । ସେ ଓଡ଼ିଶାର ପ୍ରଥମ ପେଶାଦାର କଣ୍ଠଶିଳ୍ପୀ ଥିଲେ ଏବଂ ମୁଖ୍ୟତଃ ଓଡ଼ିଶୀ ସଙ୍ଗୀତର ଓଡ଼ିଶୀ ବା ଚଉପଦୀ, ଛାନ୍ଦ, ଚମ୍ପୂ, ଚଉତିଶା, ଜଣାଣ, ଭଜନ, ପୋଈ ଆଦି ବିଭିନ୍ନ ବିଭାବ, ରାମଲୀଳା (ବିଶି ଖୁଣ୍ଟିଆ, ସଦାଶିବ ବୈଶ୍ୟ, କେଶବ ପଟ୍ଟନାୟକ ଆଦି ବିବିଧ କବିଙ୍କ ରାମଲୀଳା) ଭଳି ପାରମ୍ପରିକ ସଙ୍ଗୀତ ତଥା କୃଷ୍ଣଲୀଳା ଏବଂ ପଲ୍ଲୀଗୀତ ଆଦି ଗାନରେ ପ୍ରବୀଣ ଥିଲେ । ତାଙ୍କ କଣ୍ଠରେ ବୈଦେହୀଶ ବିଳାସ, ବିଦଗ୍ଧ ଚିନ୍ତାମଣି, ବିଚିତ୍ର ରାମାୟଣ, ମଥୁରାମଙ୍ଗଳ, ଗୋପୀଭାଷା, କିଶୋରଚନ୍ଦ୍ରାନନ୍ଦ ଚମ୍ପୂ ଆଦି ପ୍ରାଚୀନ କାବ୍ୟକୃତିରୁ ଗୀତମାନ ରେକର୍ଡ଼ ହୋଇଛି । ଏହା ଛଡ଼ା ସେ ଅନେକ ନୀତିଶିକ୍ଷା ଓ ସରକାରୀ ଉଦ୍ଦେଶ୍ୟରେ ଜନ ସଚେତନତା ଗୀତ ମଧ୍ୟ ଗାଇଛନ୍ତି ।
ଉତ୍ତରାଖଣ୍ଡର ରାଜ୍ୟର ଗଡ଼ୱାଲ ଅଞ୍ଚଳରେ ସମୁଦ୍ର ପତ୍ତନରୁ ପ୍ରାୟ ୩୫୮୧ ମିଟର ଉଚ୍ଚ କେଦାର ଉପତ୍ୟକାରେ ପବିତ୍ର ମନ୍ଦାକିନୀ ନଦୀ ତଟରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ମନ୍ଦିର ଅବସ୍ତିତ । ଭଗବାନ ଶିବ ଶ୍ରୀକେଦାରନାଥ ଜ୍ୟୋଲିର୍ଲିଙ୍ଗ ରୂପେ ହିମାଳୟ କୋଳରେ ବିରାଜ ମାନ ହେଇଛନ୍ତି । ହିନ୍ଦୁଶାସ୍ତ୍ର,ପୁରାଣ ଓ ପୁରାତନ ରଚନାମାନଙ୍କରେ ଏହି ଅଞ୍ଚଳକୁ କେଦାରଖଣ୍ଡ ଭାବେ ବର୍ଣ୍ଣନା କରାଯାଇଛି ।
ଓଷ୍ଟିଓଆର୍ଥ୍ରାଇଟିସ (ଓଏ) ବା କ୍ଷୟକାରୀ ଗଣ୍ଠି ରୋଗ, ଅନ୍ୟ ଜଣାଶୁଣା ନାମ ଡିଜେନେରେଟିଭ ଆର୍ଥ୍ରାଇଟିସ, ଡିଜେନେରେଟିଭ ଗଣ୍ଠି ରୋଗ, ବା ଡିଜେନେରେଟିଭ ଆର୍ଥ୍ରୋସିସ, ଏକ ପ୍ରକାର ଗଣ୍ଠି ରୋଗ ଯେଉଁଥିରେ ଗଣ୍ଠି ଉପାସ୍ଥି ଓ ଏହା ନିମ୍ନସ୍ଥ ଅସ୍ଥି କ୍ଷୟ ହୁଏ । ଏହି ରୋଗର ଅତି ସାଧାରଣ ଲକ୍ଷଣ ମଧ୍ୟରେ ଗଣ୍ଠି ଯନ୍ତ୍ରଣା ଓ ଗଣ୍ଠି ଚଳନ ଅକ୍ଷମତା ମୂଖ୍ୟତଃ ଦେଖାଯାଏ । ପ୍ରଥମେ ପ୍ରଥମେ ବ୍ୟାୟାମ କଲାପରେ ଲକ୍ଷଣ ପ୍ରକାଶ ପାଏ, ସମୟ କ୍ରମେ ଏହା ସର୍ବଦା ପ୍ରକାଶ ପାଏ । ଅନ୍ୟାନ୍ୟ ଲକ୍ଷଣ: ଗଣ୍ଠିରେ ତରଳ ପଦାର୍ଥ ଜମେ, ଗଣ୍ଠିର ଚଳନ କ୍ଷମତା କମିଯାଏ, ପିଠି ଗଣ୍ଠିରେ ରୋଗ ହେଲେ ପିଠି ଦୁର୍ବଳ ଲାଗେ କିମ୍ବା ହାତ ଗୋଡ କାଲୁଆ ହୋଇଯାଏ । ଅଧିକ ରୋଗଗ୍ରସ୍ତ ହେଉଥିବା ଗଣ୍ଠିମାନଙ୍କର ନାମ ଆଙ୍ଗୁଠି ଅଗ ଗଣ୍ଠି, ବୃଦ୍ଧାଙ୍ଗୁଳି ମୂଳ ଗଣ୍ଠି, ବେକ, ଅଣ୍ଟା, ଆଣ୍ଠୁ ଓ ପିଚା ଗଣ୍ଠି । ଦେହର ଏକ ପାଖର ଗଣ୍ଠି ଅଧିକ ରୋଗଗ୍ରସ୍ତ ହୁଏ । ସାଧାରଣତଃ ବର୍ଷ ବର୍ଷ ଧରି ରୋଗ ଧୀରେ ଧୀରେ ହୁଏ । ଏହାଦ୍ୱାରା ବ୍ୟବସାୟ ଓ ଦୈନନ୍ଦିନ କାର୍ଯ୍ୟ ବାଧାପ୍ରାପ୍ତ ହୁଏ । ଅନ୍ୟାନ୍ୟ ଗଣ୍ଠି ରୋଗ ଭଳି ନ ହୋଇ ଏହା କେତେକ ନିର୍ଦ୍ଦିଷ୍ଟ ଗଣ୍ଠିକୁ ଧରେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି Akash Das Nayak ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଲଗାନ ହେଉଛି ୨୦୦୧ ମସିହାରେ ମୁକ୍ତିଲାଭ କରିଥିବା ଏକ କ୍ରୀଡ଼ା (କ୍ରିକେଟ) ପ୍ରସଙ୍ଗ ଯୁକ୍ତ ନାଟକୀୟ ହିନ୍ଦୀ ଚଳଚ୍ଚିତ୍ର । ଚଳଚ୍ଚିତ୍ରର ନିର୍ଦ୍ଦେଶକ ହେଉଛନ୍ତି ଆଶୁତୋଷ ଗୋୱାରିକର । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ଅମିର ଖାଁ ଓ ଗ୍ରେସି ସିଂ । ଜୁନ ୧୫, ୨୦୦୧ରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟି ଭାରତ ତଥା ବିଦେଶରେ ଅଦ୍ଭୁତପୂର୍ବ ବ୍ୟାବସାୟିକ ସଫଳତା ଲାଭ କରିଥିଲା । ଚଳଚ୍ଚିତ୍ରର ସଂଗୀତ ପରିଚାଳନା କରିଥିଲେ ଏ ଆର୍ ରେହେମାନ । ଚଳଚ୍ଚିତ୍ରଟି ଆନ୍ତର୍ଜାତୀୟ ତଥା ଭାରତୀୟ ଚଳଚ୍ଚିତ୍ର ମହୋତ୍ସବରେ ଆୱାର୍ଡ ଲାଭ କରିଥିଲା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମନ ମୋ ନେଇଗଲୁ ରେ, ୨୦୨୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁନିଲ କୁମାର ଦାଶ । ଦିଲ୍ଲୀପ କୁମାର ଦାଶ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ସଞ୍ଜୟ ନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ହଳଧର ନାଗ ଜଣେ ଭାରତୀୟ କୋଶଳୀ-ସମ୍ବଲପୁରୀ-ଭାଷୀ ଲୋକକବି, ଲେଖକ ଓ ରାମକଥା ଗାୟକ । ଜଣେ ଲୋକ କବି ଭାବରେ ସେ ପ୍ରାରମ୍ଭିକ ଜୀବନରେ ଭଜନ, ରସରକେଲି, ଡାଲଖାଇ, ସଜନୀ ଆଦି ପାରମ୍ପରିକ ସମ୍ବଲପୁରୀ ଗୀତ ରଚନା କରିଥିଲେ ଓ ସେସବୁ ସ୍ଥାନୀୟ ଦଣ୍ଡ ନାଟରେ ପରିବେଷଣ କରାଯାଉଥିଲା । ମହାସତୀ ଉର୍ମିଳା, ଆଛିଆ, ତାରା ମନ୍ଦୋଦରୀ, ବଛର, ସିରି ସମଲାଇ, ବୀର ସୁରେନ୍ଦ୍ର ସାଏ, କରମସାଣୀ, ରସିଆ କବି, ପ୍ରେମ ପ୍ରଧାନ ଆଦି ତାଙ୍କର ଉଲ୍ଲେଖନୀୟ ରଚନା । ତାଙ୍କର ସାହିତ୍ୟ ରଚନା ନିମନ୍ତେ ସେ ୨୦୧୪ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ୨୦୧୭ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଭାଷା ସମ୍ମାନ ପାଇଥିଲେ । ୨୦୧୬ ମସିହାରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଥିଲେ ଓ ୨୦୨୦ ମସିହାରେ ତାଙ୍କ ନାମରେ ପଦ୍ମଶ୍ରୀ ହଳଧର ନାଗ ସାଧନା କୁଟୀର ଓ ସଂଗ୍ରହାଳୟ ଉଦ୍ଘାଟନ କରିଥିଲେ । ତାଙ୍କୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଡକ୍ଟରେଟ ସମ୍ମାନ ପ୍ରଦାନ କରାଥିଲେ । ତାଙ୍କ ରଚନାବଳୀ ଓଡ଼ିଆ, ହିନ୍ଦୀ ଓ ଇଂରାଜୀରେ ଅନୂଦିତ ହୋଇଛି । ତାଙ୍କ ନାମରେ ଜନ୍ମଭୂମି ବରଗଡ଼ ଜିଲ୍ଲାର ଘେଁସଠାରେ ଏକ କୋଶଳୀ ଭାଷା ଓ ସାହିତ୍ୟ ଗବେଷଣା ପ୍ରତିଷ୍ଠାନ ସ୍ଥାପିତ ହୋଇଥିଲା ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
ଟିକେ ଖରା ଟିକେ ଛାଇ, ୨୦୧୭ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ନିର୍ଦ୍ଦେଶନା ଦେଇଥିଲେ କୁମାର ସରୋଜ ଏବଂ ପ୍ରଯୋଜନା କରିଥିଲେ ଅୟସ୍କାନ୍ତ ମହାନ୍ତି । ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ବିଶ୍ୱ ସ୍ୱରୂପ । ଜତୀନ୍ଦ୍ର ପ୍ରଧାନ, ବିଶ୍ୱ ସ୍ୱରୂପ, ମାନସ ସାମଲ, ଦେବୀଦତ୍ତ ମହାନ୍ତି ପ୍ରମୁଖ ଏହି ଚଳଚ୍ଚିତ୍ରର ଗୀତ ରଚନା କରିଥିଲେ । ବିଶ୍ୱ ସ୍ୱରୂପ, ହ୍ୟୁମାନ ସାଗର, ଯସସ୍ୱିନୀ ନାୟକ, ଅସୀତ ତ୍ରିପାଠୀ, ଅସୀମା ପଣ୍ଡା, ସୁଦୀପ ପ୍ରଭୁ ପ୍ରମୁଖ ଏହି ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ ।
ତରଙ୍ଗ ସିନେ ପ୍ରଡକ୍ସନ୍ରେ ପୂଜା ଭରଲାୱାଲାଙ୍କ ପ୍ରଯୋଜିତ ଓଡ଼ିଆ ଚଳଚ୍ଚିତ୍ର ଲଭ୍ ପାଇଁ କୁଛ୍ ଭି କରେଗା ନିର୍ଦ୍ଦେଶକ ଅଶୋକ ପତିଙ୍କ ନିର୍ଦ୍ଦେଶନାରେ ନିର୍ମାଣ ହୋଇଥିଲା । ଏଇ ଚଳଚ୍ଚିତ୍ରଟି ୨୦୧୬ ଦୁର୍ଗାପୂଜା ଅବସରରେ ମୁକ୍ତିଲାଭ କରିବ । ଏହି ଚଳଚ୍ଚିତ୍ରରେ ଅଭିଜିତ ମଜୁମଦାର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିବା ବେଳେ ଗୀତ ରଚନା କରିଥିଲେ ନିର୍ମଳ ନାୟକ । ମୁଖ୍ୟ ଭୂମିକାରେ ଅଭିନେତା ବାବୁଶାନ୍ ଓ ନବାଗତା ନାୟିକା ସୁପ୍ରିୟାଙ୍କୁ ଏଇ ଚଳଚ୍ଚିତ୍ରରେ ପ୍ରଥମ କରି ଏକାଠି ଅଭିନୟର ସୁଯୋଗ ମିଳିଥିଲା ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷାର ସାମୁହିକ ବ୍ୟବହାର ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ଓଡ଼ିଆ ଭାଷା ଆନ୍ଦୋଳନ ନାମରେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଛୁରିଅନା ବକୁଳବନରୁ ତାଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ଏହା ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ତପନ କୁମାର ମିଶ୍ର ଏବେ ସମାଜର ସମ୍ପାଦକ ଏବଂ ପ୍ରଭାସ ଚନ୍ଦ୍ର ଆଚାର୍ଯ୍ୟ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଗାମୁଛା ଏକ ଛୋଟ ନିତ୍ୟ ବ୍ୟବହାର୍ଯ୍ୟ ବସ୍ତ୍ର । ଏହାର ଲମ୍ବ ସାଧାରଣତଃ ୧.୫ମିରୁ ୨.୫ମି ଭିତରେ ହୋଇଥାଏ । ଏହା ସାଧାରଣତଃ ଗେରୁଆ ରଙ୍ଗର ହୋଇଥାଏ । ଏହାକୁ ଓଡ଼ିଶା, ଆସାମ, ପଶ୍ଚିମବଙ୍ଗ ଏବଂ ବିହାରରେ ବହୁଳ ଭାବରେ ବ୍ୟବହାର କରାଯାଏ । ଆସାମରେ ଏହା ଗାମୋସା ବା ଗାମୋଛା ନାମରେ ପରିଚିତ । ଶସ୍ତା ତଥା ସୁଲଭ ହୋଇଥିବାରୁ ଏହା ଖୁବ ଲୋକପ୍ରିୟ । ହିନ୍ଦୁ ପୂଜା ପଦ୍ଧତିରେ ଗାମୁଛାର ପ୍ରମୁଖ ଭୂମିକା ରହିଛି । ପୂଜା କରିବା ସମୟରେ ମଧ୍ୟ ଏହାକୁ ପରିଧାନ କରାଯାଏ । ଗାମୁଛା ତିଆରି ପାଇଁ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲା ପୃଥିବୀ ପ୍ରସିଦ୍ଧ । ଆଜିକାଲି ଗାମୁଛା ଉପରେ ବିଭିନ୍ନ ପ୍ରୟୋଗ କରାଯାଇ ଏହାକୁ ଏକ ଫେଶନ ସାମଗ୍ରୀ ରୂପରେ ମଧ୍ୟ ବ୍ୟବହାର କରାଗଲାଣି । ଆସାମ ଗାମୋଛା ବିଶ୍ୱ ରେକର୍ଡ଼ ପ୍ରତିଷ୍ଠା କରିସାରିଲାଣି । ଅଧୁନା ହାତବୁଣା ଗାମୁଛାର ଉତ୍ପାଦନ କମିଯାଇଛି ।
ଇଲିଆନା ସିତାରିଷ୍ଟ ଇଟାଲୀରେ ଜନ୍ମିତ ଓ ଭୁବନେଶ୍ୱରରେ ରହୁଥିବା ଜଣେ ଓଡ଼ିଶୀ ଏବଂ ଛଉ ନାଚ ନୃତ୍ୟଶିଳ୍ପୀ । ୧୯୯୫ ମସିହାରେ ମୃଣାଳ ସେନଙ୍କ ନିର୍ମିତ "ଯୁଗାନ୍ତ" ଚଳଚ୍ଚିତ୍ରରେ ତାଙ୍କୁ ଶ୍ରେଷ୍ଠ ନୃତ୍ୟ ନିର୍ଦ୍ଦେଶନା ପାଇଁ ୪୩ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲା । ଏହା ବ୍ୟତୀତ ୨୦୦୬ରେ ଓଡ଼ିଶୀ ନୃତ୍ୟକୁ ବିଶେଷ ଅବଦାନ ପାଇଁ ସେ ପଦ୍ମଶ୍ରୀ ଉପାଧୀରେ ସମ୍ମାନିତ ।
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଅସୀମା ପଣ୍ଡା ଜଣେ ଓଡ଼ିଆ କଣ୍ଠଶିଳ୍ପୀ । ସେ ମୁଖ୍ୟତଃ ଓଡ଼ିଆ ଏବଂ ସମ୍ବଲପୁରୀ ଗୀତ ଗାଆନ୍ତି । ଅସୀମା ଓଡ଼ିଆ ଆଲବମ୍, ଭଜନ ଓ କଥାଚିତ୍ର ଜଗତରେ ଜଣେ ଜଣାଶୁଣା ଗାୟିକା । ଅସୀମା ପଣ୍ଡା ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ଗାଇବା ଆରମ୍ଭ କରିଥିଲେ । ଓଡ଼ିଆ କଥାଚିତ୍ର ହରି ଓମ୍ ହରିରେ ସେ ପ୍ରଥମଥର ପାଇଁ ଓଡ଼ିଆ କଥାଚିତ୍ର ପାଇଁ ଗୀତ ଗାଇଥିଲେ ଏବଂ ଏହାପରେ ଗଞ୍ଜା ଲଢ଼େଇ, ୱାନ୍ ୱେ ଟ୍ରାଫିକ୍, ଗଞ୍ଜା ଲଢ଼େଇ, ଆଶିକ୍, ତୁ କହିବୁ ନା ମୁଁ, ତୁ ମୋର ସପନ ରାଣୀ, ପ୍ରେମର ନିଶା ନିଆରା ନିଆରା, ମୁଁ ପରଦେଶୀ ଚଢ଼େଇ, ତୁ ମୋ ସୁନା ଚଢ଼େଇ, ଫ୍ରମ୍ ମି ଟୁ ୟୁ, ଟାଇଗର, ଲଭ୍ ଟୁଇଷ୍ଟ, ମୁଁ ଖାଣ୍ଟି ଓଡ଼ିଆ ଝିଅ, ତୋ ପ୍ରେମରେ ପଡ଼ିଲା ପରେ, ଏମିତି ବି ହେଇପାରେ, ଅଭିମାନ, ମୁଇଁ ଦିୱାନା ତୁଇ ଦିୱାନୀ, ତୁ ମୋ ହିରୋ, ଅଦୃଶ୍ୟମ୍, ବାପା ତମେ ଭାରି ଦୁଷ୍ଟ, ଦେଲେ ଧରା କଥା ସରେ, ସୀତାରାମଙ୍କ ବାହାଘର କଳିଯୁଗରେ, ସେଲଫିସ୍ ଦିଲ୍, ଏକ୍ସକ୍ୟୁଜ ମି, ଲୋକାଲ ଟୋକା ଲଭ୍ ଚୋଖା, ପ୍ୟାର ଅଲଗା ପ୍ରକାର, ଲଭ୍ ଏକ୍ସପ୍ରେସ୍, ଟିକେ ଅନାଡ଼ି ପୂରା ଖିଲାଡ଼ି, ନାୟକର ନାଁ ଦେବଦାସ, ମିଠା ମିଠା, ଲୈଲା ଓ ଲୈଲା, ହାପି ଲକି, ହେଲୋ- ଇନ୍ ଲଭ୍, ଟୋକାଟା ଫସିଗଲା, ଯୋଗୀ, ବିଶ୍ୱରୂପ ଆଦି କଥାଚିତ୍ରରେ କଣ୍ଠଦାନ କରିଥିଲେ । ଅସୀମା ଓଡ଼ିଆ କଥାଚିତ୍ର ବ୍ୟତୀତ ବିଭିନ୍ନ ଆଲବମ୍ ଗୀତ ଏବଂ ଭଜନରେ କଣ୍ଠଦାନ କରିଛନ୍ତି । ପ୍ରାର୍ଥନା ଟିଭିରେ ପ୍ରସାରିତ ଭଜନ ଅନ୍ତାକ୍ଷରୀ, ପ୍ରାର୍ଥନା ମଞ୍ଚ ଭଳି କାର୍ଯକ୍ରମରେ ଭଜନ ପରିବେଷଣ କରନ୍ତି ।
ଲଡ଼ୁ କିଶୋର ସ୍ୱାଇଁ (୮ ଜୁଲାଇ ୧୯୪୭ - ୫ ଫେବୃଆରୀ ୨୦୧୯) ଜଣେ ଭାରତୀୟ ରାଜନୀତିଜ୍ଞ ଥିଲେ । ସେ ୨୦୦୪ ଓଡ଼ିଶା ବିଧାନ ସଭା ନିର୍ବାଚନରେ ଓଡ଼ିଶାର କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଓଡ଼ିଶାର ଆସ୍କା ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଭାରତର ସଂସଦର ତଳ ସଦନ ଲୋକ ସଭାର ୧୬ଶ ସଭାକୁ ନିର୍ବାଚିତ ହୋଇଥିଲେ । ୫ ଫେବୃଆରୀ ୨୦୧୯ରେ ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପାତାଳରେ ତାଙ୍କର ମୃତ୍ୟୁ ହୋଇଥିଲା ।