ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଆନ୍ତର୍ଜାତିକ ଯୋଗ ଦିବସ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ ହୁଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା । ଅଳ୍ପ କେତୋଟି ମୁସଲିମ ରାଷ୍ଟ୍ରକୁ ବାଦ ଦେଲେ ପ୍ରାୟ ସମସ୍ତ ଦେଶ ଏହାକୁ ପାଳନ ଲାଗି ସମର୍ଥନ କରିଥିଲେ । ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ । । ପ୍ରାୟ ୬୦୦୦ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବାର ଅନୁମାନ କରାଯାଏ । ଯୋଗଦ୍ୱାରା ସ୍ୱାସ୍ଥ୍ୟଗତ ଲାଭ ସମସ୍ତେ ନେବା ଓ ଏହାକୁ ଦୈନିକ ନିଜ ଦିନଚର୍ଯାରେ ଅଂଶିଭୂତ ପାଇଁ ଅନୁରୋଧ କରିବା ସହ ଭାରତ ଏହାକୁ ନିଜର ବୌଦ୍ଧିକ ସମ୍ପତି ଦାବୀ କରେନାହିଁ ବୋଲି ସ୍ପଷ୍ଟୋକ୍ତି ଦେଇଥିଲା ।
ଯୋଗ (ଇଂରାଜୀ:Yoga (; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କଲେରା ମାନବ କ୍ଷୁଦ୍ର ଅନ୍ତନଳୀରେ ଜୀବାଣୁ ଭିବ୍ରିଓ କଲେରିର କେତେକ ପ୍ରଜାତିଦ୍ୱାରା ହେଉଥିବା ରୋଗର ନାମ । ଓଡ଼ିଆରେ ଏହାକୁ ବିସୂଚିକା, ଓଲାଉଠା, ମହାମାରୀ ଓ ହଇଜା ନାମ ମଧ୍ୟ ଦିଆଯାଇଛି । ଏହାର ଲକ୍ଷଣ: ସାମାନ୍ୟରୁ ଗମ୍ଭୀର ଧରଣର ହୋଇପାରେ, କିଛି ବି ନ ହୋଇପାରେ । ସ୍ୱାଭାବିକ ଲକ୍ଷଣ ମଧ୍ୟରେ ବହୁତ ପରିମାଣର ପାଣିଭଳି ତରଳ ଝାଡ଼ା କିଛି ଦିନ ହୁଏ । ବାନ୍ତି ଓ ମାଂସପେଶୀ କ୍ରାମ୍ପ ହୋଇପାରେ । ଅତ୍ୟଧିକ ତରଳ ଝାଡ଼ା ହେଲେ କିଛି ଘଣ୍ଟା ମଧ୍ୟରେ ଗମ୍ଭୀର ନିର୍ଜଳନ ଓ ଇଲେକ୍ଟ୍ରୋଲାଇଟ ଅସନ୍ତୁଳନ ହୁଏ । ଏହାଦ୍ୱାରା ଆଖି କୋଟରଗତ ହୁଏ, ଚର୍ମ ଥଣ୍ଡା ହୁଏ ତଥା ଇଲାସ୍ଟିସିଟି କମିଯାଏ ଏବଂ ହାତ ଓ ପାଦର ଚର୍ମ କୁଞ୍ଚିତ ହୋଇଯାଏ । ନିର୍ଜଳନ ଯୋଗୁ ଚର୍ମ ନୀଳ ହୋଇଯାଏ ଯାହାକୁ ସ୍ୟାନୋସିସ (cyanosis) କୁହାଯାଏ । ଜୀବାଣୁ ପ୍ରବେଶ ପରଠାରୁ ୨ ଘଣ୍ଟାରୁ ୫ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଅନେକ ପ୍ରକାର ଭିବ୍ରିଓ କଲେରି ଜୀବାଣୁର ପ୍ରଜାତିଦ୍ୱାରା କଲେରା ରୋଗ ହୁଏ; କେତେକ ପ୍ରଜାତି ଅନ୍ୟ ପ୍ରଜାତି ଅପେକ୍ଷା ଗମ୍ଭୀର ଧରଣର ରୋଗ କରନ୍ତି । ଅଧିକାଂଶ କ୍ଷେତ୍ରରେ ଜଳ ଓ ଖାଦ୍ୟରେ ଜୀବାଣୁ ମିଶ୍ରିତ ମଳ ଅପମିଶ୍ରିତ ଥିଲେ ଏହି ରୋଗ ବ୍ୟାପେ । ଉତ୍ତମରୁପେ ରନ୍ଧାଯାଇନଥିବା ସାମୁଦ୍ରିକ ଖାଦ୍ୟ ଏହି ରୋଗର ସାଧାରଣ ଉତ୍ସ । ମାନବ ଏକମାତ୍ର ପ୍ରାଣୀ ଯାହାକୁ ଏହି ରୋଗ ହୁଏ । ଅପରିଚ୍ଛନତା, ଅଶୁଦ୍ଧ ପାନୀୟ ଜଳ ଓ ଦାରିଦ୍ର୍ୟ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ମଳ ପରୀକ୍ଷା କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ଶୀଘ୍ର ନିର୍ଣ୍ଣୟ ନିମନ୍ତେ ଡିପସ୍ଟକ ପରୀକ୍ଷା ମିଳୁଛି କିନ୍ତୁ ଏହା ସଠିକ ନୁହେଁ । ଉନ୍ନତ ପରିଚ୍ଛନ୍ନତା ଓ ବିଶୁଦ୍ଧ ଜଳ ଯୋଗାଣଦ୍ୱାରା ଏହି ରୋଗ ପ୍ରତିରୋଧ କରାଯାଇପାରିବ । କଲେରା ଟିକା ପାଟିରେ ଦିଆହୋଇଥିଲେ ପ୍ରାୟ ୬ମାସ ଧରି ସୁରକ୍ଷା ଦିଏ । ଏହାଦ୍ୱାରା ତରଳ ଝାଡ଼ା କରାଉଥିବା ଅନ୍ୟ ଏକ ଜୀବାଣୁ ଇ.
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କବିକଳହଂସ ଗୋପାଳକୃଷ୍ଣ ପଟ୍ଟନାୟକ (୧୭୮୪ - ୧୮୬୨) ଅଷ୍ଟାଦଶ ଶତାବ୍ଦୀର ଜଣେ ପ୍ରଖ୍ୟାତ ଓଡ଼ିଶୀ ସଙ୍ଗୀତକାର କବି । ସେ ପ୍ରାଚୀନ ଉତ୍କଳୀୟ ସଙ୍ଗୀତ ଅନୁସରଣରେ ବହୁସଂଖ୍ୟକ ଓଡ଼ିଶୀ ପ୍ରବନ୍ଧ, ଛାନ୍ଦ, ଚଉତିଶା, ଭଜନ ଓ ଜଣାଣ, କୋଇଲି, ଚଉତିଶା ଆଦି ରଚନା କରିଛନ୍ତି । 'ଉଠିଲୁ ଏଡ଼େ ବେଗି କାହିଁକି ରେ', 'ଅନୁସରିତ ପ୍ରଭୋ କାଳଯାକ ଗଲା ସରିତ', 'ସଙ୍ଗିନୀରେ ରାସ ରଙ୍ଗିନୀରେ' ଇତ୍ୟାଦି ଗୋପାଳକୃଷ୍ଣଙ୍କ ଅସଂଖ୍ୟ ଗୀତଗୁଡ଼ିକ ଅଦ୍ୟାବଧି ଓଡ଼ିଶାର ଗ୍ରାମେ ଗ୍ରାମେ ଲୋକମୁଖରେ ଶୁଣାଯାଏ । ତାଙ୍କ କବିତାଗୁଡ଼ିକ ସଂଗୃହିତ ହୋଇ ରଚନାବଳୀ ବା ଗ୍ରନ୍ଥାବଳୀ ଭାବେ ଅନେକବାର ପ୍ରକାଶିତ ହୋଇଛି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ହଳଧର ନାଗ ଜଣେ ଭାରତୀୟ କୋଶଳୀ-ସମ୍ବଲପୁରୀ-ଭାଷୀ ଲୋକକବି, ଲେଖକ ଓ ରାମକଥା ଗାୟକ । ଜଣେ ଲୋକ କବି ଭାବରେ ସେ ପ୍ରାରମ୍ଭିକ ଜୀବନରେ ଭଜନ, ରସରକେଲି, ଡାଲଖାଇ, ସଜନୀ ଆଦି ପାରମ୍ପରିକ ସମ୍ବଲପୁରୀ ଗୀତ ରଚନା କରିଥିଲେ ଓ ସେସବୁ ସ୍ଥାନୀୟ ଦଣ୍ଡ ନାଟରେ ପରିବେଷଣ କରାଯାଉଥିଲା । ମହାସତୀ ଉର୍ମିଳା, ଆଛିଆ, ତାରା ମନ୍ଦୋଦରୀ, ବଛର, ସିରି ସମଲାଇ, ବୀର ସୁରେନ୍ଦ୍ର ସାଏ, କରମସାଣୀ, ରସିଆ କବି, ପ୍ରେମ ପ୍ରଧାନ ଆଦି ତାଙ୍କର ଉଲ୍ଲେଖନୀୟ ରଚନା । ତାଙ୍କର ସାହିତ୍ୟ ରଚନା ନିମନ୍ତେ ସେ ୨୦୧୪ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ୨୦୧୭ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଭାଷା ସମ୍ମାନ ପାଇଥିଲେ । ୨୦୧୬ ମସିହାରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଥିଲେ ଓ ୨୦୨୦ ମସିହାରେ ତାଙ୍କ ନାମରେ ପଦ୍ମଶ୍ରୀ ହଳଧର ନାଗ ସାଧନା କୁଟୀର ଓ ସଂଗ୍ରହାଳୟ ଉଦ୍ଘାଟନ କରିଥିଲେ । ତାଙ୍କୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଡକ୍ଟରେଟ ସମ୍ମାନ ପ୍ରଦାନ କରାଥିଲେ । ତାଙ୍କ ରଚନାବଳୀ ଓଡ଼ିଆ, ହିନ୍ଦୀ ଓ ଇଂରାଜୀରେ ଅନୂଦିତ ହୋଇଛି । ତାଙ୍କ ନାମରେ ଜନ୍ମଭୂମି ବରଗଡ଼ ଜିଲ୍ଲାର ଘେଁସଠାରେ ଏକ କୋଶଳୀ ଭାଷା ଓ ସାହିତ୍ୟ ଗବେଷଣା ପ୍ରତିଷ୍ଠାନ ସ୍ଥାପିତ ହୋଇଥିଲା ।
ଲଗାନ ହେଉଛି ୨୦୦୧ ମସିହାରେ ମୁକ୍ତିଲାଭ କରିଥିବା ଏକ କ୍ରୀଡ଼ା (କ୍ରିକେଟ) ପ୍ରସଙ୍ଗ ଯୁକ୍ତ ନାଟକୀୟ ହିନ୍ଦୀ ଚଳଚ୍ଚିତ୍ର । ଚଳଚ୍ଚିତ୍ରର ନିର୍ଦ୍ଦେଶକ ହେଉଛନ୍ତି ଆଶୁତୋଷ ଗୋୱାରିକର । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ଅମିର ଖାଁ ଓ ଗ୍ରେସି ସିଂ । ଜୁନ ୧୫, ୨୦୦୧ରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟି ଭାରତ ତଥା ବିଦେଶରେ ଅଦ୍ଭୁତପୂର୍ବ ବ୍ୟାବସାୟିକ ସଫଳତା ଲାଭ କରିଥିଲା । ଚଳଚ୍ଚିତ୍ରର ସଂଗୀତ ପରିଚାଳନା କରିଥିଲେ ଏ ଆର୍ ରେହେମାନ । ଚଳଚ୍ଚିତ୍ରଟି ଆନ୍ତର୍ଜାତୀୟ ତଥା ଭାରତୀୟ ଚଳଚ୍ଚିତ୍ର ମହୋତ୍ସବରେ ଆୱାର୍ଡ ଲାଭ କରିଥିଲା ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଟିକେ ଅନାଡ଼ି ପୂରା ଖିଲାଡ଼ି, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରବିନ୍ ନନ୍ଦ । ଅଜୟ ସାମଲ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଲୋକନାଥ ବାରିକ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଗ୍ନିରାଜ କିଶୋର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ତରଳ ଝାଡ଼ା (ଇଂରାଜୀରେ Diarrhea କିମ୍ବା diarrhoea) ରୋଗର ସଂଜ୍ଞା ଅନୁସାରେ ପ୍ରତ୍ୟେକ ଦିନ ଅତି କମ୍ରେ ତିନି ଥର ତରଳ ଝାଡ଼ା ହେବା ଆବଶ୍ୟକ । ଏହା ସାଧାରଣତଃ କିଛି ଦିନ ନିମନ୍ତେ ରହିପାରେ, ଫଳରେ ଦେହର ଜଳୀୟ ଅଂଶ ହ୍ରାସ (ନିର୍ଜଳନ) ହୁଏ । ଚର୍ମର ଇଲାସ୍ଟିସିଟି କମିଯିବା ଓ ରୋଗିର ବ୍ୟକ୍ତିତ୍ୱ ପରିବର୍ତ୍ତନ ହେଉଛି ନିର୍ଜଳନର ଚିହ୍ନ । ପରିସ୍ରା ପରିମାଣ କମିଯାଏ, ଚର୍ମ ଶେତା ଦେଖାଯାଏ, ନାଡ଼ି ଦୃତ ହୁଏ ଓ ଗମ୍ଭୀର ଅବସ୍ଥା ହେଲେ ଚେତନ ଅବସ୍ଥା କମେ ତଥା ସମ୍ବେଦନହୀନ ହୁଏ । ପାଣିଆ ଝାଡ଼ା ସ୍ତନ୍ୟପାନ କରୁଥିବା ପିଲାଙ୍କର ଝାଡ଼ା ପତଳା ହେଲେ ମଧ୍ୟ ତାହା ସାଧାରଣ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଡନ୍ କିମ୍ବା Don: The Chase Begins Again ହେଉଛି ୨୦୦୬ ମସିହାରେ ମୁକ୍ତିଲାଭ କରିଥିବା ଏକ ହିନ୍ଦୀ ଚଳଚ୍ଚିତ୍ର ଯାହାକି ମୂଳ ହିନ୍ଦୀ କଥାଚିତ୍ର ଡନ୍ର ଉତ୍ତର କଥା ଚଳଚ୍ଚିତ୍ର (sequel) । ଚଳଚ୍ଚିତ୍ରର ମୁଖ୍ୟ ଭୁମିକାରେ ଅଭିନୟ କରିଛନ୍ତି ସାହାରୁଖ ଖାଁ, ପ୍ରିୟଙ୍କା ଚୋପ୍ରା, ଅର୍ଜୁନ ରାମପାଳ, ବୋମାନ ଇରାନୀ, ଓମ ପୁରୀ ଇତ୍ୟାଦି । ଚଳଚ୍ଚିତ୍ରର ଚିତ୍ରନାଟ୍ୟ ନିର୍ଦ୍ଦେଶକ ହେଉଛନ୍ତି ଫରହାନ ଅଖତର ଏବଂ ପ୍ରଯୋଜକ ହେଉଛନ୍ତି ଫରହାନ ଅଖତର ଓ ରିତେଶ ସିଧ୍ୱାନୀ ।
ନିମାଇଁ ଚରଣ ହରିଚନ୍ଦନ (୧୯୦୧-୧୯୮୩) ଜଣେ ଭାରତୀୟ କଣ୍ଠଶୀଳ୍ପି ଥିଲେ । ସେ ଓଡ଼ିଶାର ପ୍ରଥମ ପେଶାଦାର କଣ୍ଠଶିଳ୍ପୀ ଥିଲେ ଏବଂ ମୁଖ୍ୟତଃ ଓଡ଼ିଶୀ ସଙ୍ଗୀତର ଓଡ଼ିଶୀ ବା ଚଉପଦୀ, ଛାନ୍ଦ, ଚମ୍ପୂ, ଚଉତିଶା, ଜଣାଣ, ଭଜନ, ପୋଈ ଆଦି ବିଭିନ୍ନ ବିଭାବ, ରାମଲୀଳା (ବିଶି ଖୁଣ୍ଟିଆ, ସଦାଶିବ ବୈଶ୍ୟ, କେଶବ ପଟ୍ଟନାୟକ ଆଦି ବିବିଧ କବିଙ୍କ ରାମଲୀଳା) ଭଳି ପାରମ୍ପରିକ ସଙ୍ଗୀତ ତଥା କୃଷ୍ଣଲୀଳା ଏବଂ ପଲ୍ଲୀଗୀତ ଆଦି ଗାନରେ ପ୍ରବୀଣ ଥିଲେ । ତାଙ୍କ କଣ୍ଠରେ ବୈଦେହୀଶ ବିଳାସ, ବିଦଗ୍ଧ ଚିନ୍ତାମଣି, ବିଚିତ୍ର ରାମାୟଣ, ମଥୁରାମଙ୍ଗଳ, ଗୋପୀଭାଷା, କିଶୋରଚନ୍ଦ୍ରାନନ୍ଦ ଚମ୍ପୂ ଆଦି ପ୍ରାଚୀନ କାବ୍ୟକୃତିରୁ ଗୀତମାନ ରେକର୍ଡ଼ ହୋଇଛି । ଏହା ଛଡ଼ା ସେ ଅନେକ ନୀତିଶିକ୍ଷା ଓ ସରକାରୀ ଉଦ୍ଦେଶ୍ୟରେ ଜନ ସଚେତନତା ଗୀତ ମଧ୍ୟ ଗାଇଛନ୍ତି ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । କବି ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ସର୍ବାଧିକ ଓ ସର୍ବୋତ୍ତମ ଗବେଷଣା ଓ ସମାଲୋଚନା କରିଥିବା ଏକବିଂଶ ଶତାବ୍ଦୀର ବିଶିଷ୍ଟ ସମାଲୋଚକ, ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
ଇଲିଆନା ସିତାରିଷ୍ଟ ଇଟାଲୀରେ ଜନ୍ମିତ ଓ ଭୁବନେଶ୍ୱରରେ ରହୁଥିବା ଜଣେ ଓଡ଼ିଶୀ ଏବଂ ଛଉ ନାଚ ନୃତ୍ୟଶିଳ୍ପୀ । ୧୯୯୫ ମସିହାରେ ମୃଣାଳ ସେନଙ୍କ ନିର୍ମିତ "ଯୁଗାନ୍ତ" ଚଳଚ୍ଚିତ୍ରରେ ତାଙ୍କୁ ଶ୍ରେଷ୍ଠ ନୃତ୍ୟ ନିର୍ଦ୍ଦେଶନା ପାଇଁ ୪୩ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲା । ଏହା ବ୍ୟତୀତ ୨୦୦୬ରେ ଓଡ଼ିଶୀ ନୃତ୍ୟକୁ ବିଶେଷ ଅବଦାନ ପାଇଁ ସେ ପଦ୍ମଶ୍ରୀ ଉପାଧୀରେ ସମ୍ମାନିତ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ମେରୀ ୱୋଲଷ୍ଟୋନ୍କ୍ରାଫ୍ଟ ସେଲୀ (୩୦ ଅଗଷ୍ଟ ୧୭୯୭ - ୧ ଫେବୃଆରୀ ୧୮୫୧), ଜଣେ ଇଂରାଜୀ ଉପନ୍ୟାସ ଲେଖିକା, କ୍ଷୁଦ୍ରଗଳ୍ପ ରଚୟିତା, ନାଟ୍ୟକାର, ପ୍ରବନ୍ଧ ଲେଖିକା, ଜୀବନୀ ଲେଖିକା ଏବଂ ଭ୍ରମଣ କାହାଣୀ ଲେଖିକା ଥିଲେ । ମେରୀ ତାଙ୍କର ଉପନ୍ୟାସ ଫ୍ରାଙ୍କେନ୍ଷ୍ଟେନ୍ ପାଇଁ ବେଶ୍ ଜଣାଶୁଣା । ଏହି ଉପନ୍ୟାସଟି 'ଦ ମଡର୍ଣ୍ଣ ପ୍ରୋମେଥେସ୍' ଭାବରେ ମଧ୍ୟ ପରିଚିତ ଯାହାକି ୧୮୧୮ ମସିହାରେ ପ୍ରକାଶିତ ହୋଇଥିଲା । ସେ ତାଙ୍କର ସ୍ୱାମୀଙ୍କର କିଛି କାର୍ଯ୍ୟକୁ ସମ୍ପାଦନା କରିଥିଲେ ଏବଂ ପ୍ରଦର୍ଶନ କରିଥିଲେ । ତାଙ୍କର ପତିଙ୍କର 'ରୋମାଣ୍ଟିକ୍ ପୋଏଟ୍' ଏବଂ 'ଫିଲୋସୋଫର୍ ପେର୍କି ବାଏସି ସେଲୀ' ଆଦି ପୁସ୍ତକର ସମ୍ପାଦନା କରି ମେରୀ ତାକୁ ପ୍ରକାଶ କରିଥିଲେ । ମେରୀଙ୍କର ବାପା ଉଇଲିୟମ୍ ଗୋଡ୍ଉଇନ୍ ଜଣେ ରାଜନୈତିକା ଦାର୍ଶିନିକ ଥିଲେ ଏବଂ ତାଙ୍କର ମାଆ ମେରୀ ୱୋଲଷ୍ଟୋନ୍କ୍ରାଫ୍ଟ ଜଣେ ଦାର୍ଶିନିକ ଓ ନାରୀବାଦୀ ମଣିଷ ଥିଲେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
କଙ୍କାଳ ଶବ୍ଦର ଇଂରାଜୀ ପ୍ରତିଶବ୍ଦ ହେଉଛି ସ୍କେଲିଟନ୍ (Skeleton) ଯାହାକି ଏକ ଗ୍ରିକ୍ ଶବ୍ଦ ଓ ତାହାର ଅର୍ଥ ହେଉଛି ଶୁଷ୍କ ଦେହ ବା ମମି (skeletos = "dried-body", "mummy") । ଏହା ଶରୀରର ଏପରି ଏକ ଅଙ୍ଗ ଯିଏ ଜୀବର ସମୁଦାୟ ଶରୀରକୁ ଆଶ୍ରା (Support) ଦିଏ । ଦୁଇ ପ୍ରକାର କଙ୍କାଳ ଅଛି: ବହିଃ କଙ୍କାଳ ଓ ଅନ୍ତଃ କଙ୍କାଳ । ଯେଉଁ କଙ୍କାଳ ଜୀବ ଶରୀରର ବହିଃ ଆବରଣ ବା ଘୋଡ଼ଣୀ ଭଳି ଥାଏ ତାହାକୁ ବହିଃ କଙ୍କାଳ କହନ୍ତି । ଶରୀର ଅଭ୍ୟନ୍ତରରେ ଥିବା କଙ୍କାଳକୁ ଅନ୍ତଃ କଙ୍କାଳ କହନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଇଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଇଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
କଣ୍ଟିକପାଳୀ ବା Caesalpinia digyna (ଇଂରାଜୀରେ Teri Pods )କୃଷ୍ଣଚୂଡ଼ା (Caesalpinia) ବର୍ଗର ଏକ ଲତା ଜାତୀୟ ଉଦ୍ଭିଦ। ଏହି ଲତାର ସର୍ବାଙ୍ଗ କଣ୍ଟାରେ ପୂର୍ଣ୍ଣ ଥାଏ। ପତ୍ରଗୁଡ଼ିକ ତେନ୍ତୁଳି ପତ୍ର ପରି ଦିଶିଲେ ବି ଆକାରରେ ଟିକେ ବଡ଼ ହୋଇଥାଏ। ଫୁଲ ଗୁଡ଼ିକ ଆଁଶୁଆଁଶୁଆ, ଛୋଟ ଛୋଟ ଓ ଗୋଲ ଗୋଲ ହୋଇଥାଏ। ଫଳ ଗୁଡ଼ିକ ଜୟନ୍ତୀ ଫଳ ପ୍ରାୟ ଚେପଟା ଛୁଇଁ ପରି ହୋଇଥାଏ।
ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟ
ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟ ଓଡ଼ିଶାର ପୁରୀରେ ଅବସ୍ଥିତ ଏକ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ । ଏହା ଓଡ଼ିଶାର ରାଜଧାନୀ ଭୁବନେଶ୍ୱରଠାରୁ ୫୪ କିଲୋମିଟର ଦୂରରେ ଅବସ୍ଥିତ । ଏହି ମହାବିଦ୍ୟାଳୟ ପୁରୀ ରେଳ ଷ୍ଟେସନଠାରୁ ୨ କିଲୋମିଟର ଦୂରରେ ଅବସ୍ଥିତ । ସାମନ୍ତ ଚନ୍ଦ୍ରଶେଖରଙ୍କର ସ୍ମୃତି ସ୍ୱରୂପ, ତାଙ୍କର ଏକ ମୂର୍ତ୍ତି ମହାବିଦ୍ୟାଳୟ ମଧ୍ୟରେ ସ୍ଥାପନ କରାଯାଇଛି ।
ସୌର ଜଗତରେ ଚନ୍ଦ୍ର ପୃଥିବୀର ଚାରିପଟେ ଘୁରୁଥାଏ ଏବଂ ପୃଥିବୀ ସୂର୍ଯ୍ୟର ଚାରିପଟେ ଘୁରୁଥାଏ । ଏହି ଘୂର୍ଣ୍ଣନ ପ୍ରକ୍ରିୟା ଅହରହ ଚାଲୁଥିବା ବେଳେ ଯେଉଁ ଦିନ ଚନ୍ଦ୍ର ଘୁରୁଥିବା ଅବସ୍ଥାରେ ପୃଥିବୀ ଆଉ ସୂର୍ଯ୍ୟ ମଧ୍ୟରେ ଏକ ସରଳ ରେଖାରେ ଅବତୀର୍ଣ୍ଣ କରେ ସେହି ଦିନ ସୂର୍ଯ୍ୟଙ୍କଠାରୁ ଆସୁଥିବା ଆଲୋକର କିଛି ଅଂଶ ଚନ୍ଦ୍ରଙ୍କଦ୍ୱାରା ଆଛାଦିତ ହୋଇ ପୃଥିବୀ ପୃଷ୍ଠରେ ଛାୟା ସୃଷ୍ଟି କରେ ସେହି ସମୟରେ ସୂର୍ଯ୍ୟ ଅଂଶିକ ବା ସଂପୂର୍ଣ୍ଣ ଭାବେ ଚନ୍ଦ୍ରଦ୍ୱାରା କିଛି ସମୟ ପାଇଁ ଆଛାଦିତ ବା ଘୋଡାଇ ହୋଇଯାଆନ୍ତି । ଭୌତିକ ବିଜ୍ଞାଣା ଦୃଷ୍ଟିରେ ଏହି ଭଳି ମହା ଜାଗତୀୟ ଘଟଣାକୁ ସୌରପରାଗ ବୋଲି କୁହାଯାଏ । ଏହା କେବଳ ଅମାବାସ୍ୟା ତିଥୀରେ ସମ୍ଭବ ହୋଇଥାଏ !
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ନବଯୌବନ ବେଶ ଶ୍ରୀଜୀଉମାନେ ଆଷାଢ଼ ଅମାବାସ୍ୟା ତଥା ଉଭା ଅମାବାସ୍ୟା ତିଥିରେ ଧାରଣ କରୁଥିବା ବିଶେଷ ବେଶ ଅଟେ । ସ୍ନାନ ପୂର୍ଣ୍ଣିମାର ସ୍ନାନ ପରେ ଠାକୁରମାନେ ଅଣସର ଘରେ ଯାଇ ରହନ୍ତି । ପନ୍ଦର ଦିନ ଭକ୍ତମାନେ ତାଙ୍କର ଦର୍ଶନ ଲାଭରୁ ବଞ୍ଚିତ ହୁଅନ୍ତି । ଅଣସର ଶେଷରେ ପୁଣି ସେ ଯେଉଁଦିନ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ତାହାକୁ ନବଯୌବନ ଦର୍ଶନ କହନ୍ତି । ଖଡ଼ି ଲାଗି ଓ ବନକଲାଗି ପରେ ମହାପ୍ରଭୁଙ୍କ ପ୍ରତିମା ନୂଆ ପରି ଉଜ୍ଜ୍ୱଳ ଦିଶୁଥିବାରୁ ଏହାକୁ ନବଯୌବନ କୁହାଯାଇଥାଏ । ଏହି ସମୟରେ ମହାପ୍ରଭୁ ରତ୍ନ ସିଂହାସନକୁ ଆଉ ବିଜେ କରନ୍ତି ନାହିଁ । ନବଯୌବନ ଓ ନେତ୍ରୋତ୍ସବ ପରେ ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ଦିନ ରଥଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ବିଜେ କରନ୍ତି । ନବଯୌବନ ଦର୍ଶନ ଲାଭ ସୁଯୋଗକୁ ଶ୍ରଦ୍ଧାଳୁ ଭକ୍ତମାନେ ବର୍ଷ ବ୍ୟାପି ପ୍ରତୀକ୍ଷା କରିଥାଆନ୍ତି । କେତେକ ସମୟରେ ନେତ୍ରୋତ୍ସବ ଓ ନବଯୌବନ ତିଥିରେ ସାମାନ୍ୟ ଏପଟ ସେପଟ ମଧ୍ୟ ହୋଇଥାଏ । ନେତ୍ରୋତ୍ସବର ଅର୍ଥ ହେଲା ମହାପ୍ରଭୁମାନଙ୍କ ଚକ୍ଷୁରେ ନବଯୌବନ ବେଶର ଅନ୍ତିମ ସ୍ପର୍ଶ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।