ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କଳାପାହାଡ଼ ନାମରେ ବଙ୍ଗଳାର ମୋଗଲ ଶାସକ ସୁଲତାନ ସୁଲେମାନ କିର୍ରାନିଙ୍କର (Sulaiman Karrani) ଜଣେ ସେନାପତିଙ୍କୁ ଡକାଯାଉଥିଲା । କେତେକ ଐତିହାସିକ ତଥ୍ୟରୁ ଜଣାଯାଏ, ସେ କଳିଙ୍ଗ-ଉତ୍କଳର ଶେଷ ସମ୍ରାଟ ମୁକୁନ୍ଦଦେବଙ୍କର ହିନ୍ଦୁ (ଓଡ଼ିଆ)ସେନାପତି ଥିଲେ, ଜାତିରେ କାୟସ୍ଥ ଥିଲେ ଓ ତାଙ୍କର ନାମ ରାଜିବ ଲୋଚନ ରାୟ ଥିଲା । ଧର୍ମ ପରିବର୍ତ୍ତନ କରି ସେ ମୁସଲମାନ ହେଲେ। ସେଖ୍ କବିର ବାତିନିଙ୍କର ମତରେ କଳାପାହାଡ଼ ଆଫଗାନ ଲୋକ ଥିଲେ । ଲୋକମୁଖରେ ସେ କଳାପାହାଡ଼ ନାମରେ ପରିଚିତ ଥିଲେ । ଓଡ଼ିଶାର କେତେକ ସ୍ଥାନ ସେ ବଙ୍ଗଳାର ଆଫଗାନ ଶାସକଙ୍କ ନିମନ୍ତେ ଦଖଲ କରିଥିଲେ ।କଳା ପାହାଡ ବହୁତ ନିଷ୍ଠୁର ଥିଲେ ସେ ଆକବରଙ୍କ ବାପାଙ୍କ ମାଉସୀ ପୁଅର ପୁଅ ଥିଲେ
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ୨୦୧୯ ମସିହା ୧୧ ଅପ୍ରେଲରୁ ୨୯ ଅପ୍ରେଲ ମଧ୍ୟରେ ଓଡ଼ିଶାର ଲୋକ ସଭା ଆସନଗୁଡ଼ିକର ନିର୍ବାଚନ ସହ ମିଶିକରି ଅନୁଷ୍ଠିତ ହୋଇଥିଲା । ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକ, ଭାରତୀୟ ଜନତା ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ଧର୍ମେନ୍ଦ୍ର ପ୍ରଧାନ ଏବଂ କଂଗ୍ରେସ ଦଳ ମୁଖ୍ୟ ପ୍ରତିଯୋଗୀ ଭାବେ ନିର୍ବାଚନ ଲଢ଼ିଥିଲେ । ୧୫ଶ ବିଧାନ ସଭାର କାର୍ଯ୍ୟକାଳ ୨୪ ମଇ ୨୦୧୯ ତାରିଖରେ ସମାପ୍ତ ଘଟିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲାହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ । କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ଦାର୍ଶନିକ ହୁଏନସାଂ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ହୋମଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ହୋମ ଧୂଆଁ ବିଷୟରେ ବର୍ଣ୍ଣନା କରିଛନ୍ତି । ଉତ୍କଳ ବ୍ରାହ୍ମଣମାନଙ୍କର କିଛି ଉପନାମ ଦାଶ, ମିଶ୍ର, ରଥ, କର, ଆଚାର୍ଯ୍ୟ, ତ୍ରିପାଠୀ, ଷଡ଼ଙ୍ଗୀ, ଶର୍ମା, ଦାଶଶର୍ମା, ରଥଶର୍ମା, ନନ୍ଦ, ପଣ୍ଡା, ପାଢୀ, ପାଣି, ପାଣିଗ୍ରାହୀ, ପୁଜାପଣ୍ଡା, ବଡ଼ପଣ୍ଡା, ମହାପାତ୍ର, ଶତପଥୀ, ଓତା ଓ ହୋତା ଇତ୍ୟାଦି ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ଦାଶ ଏକ ଓଡ଼ିଆ ବ୍ରାହ୍ମଣ (ଉତ୍କଳ ବ୍ରାହ୍ମଣ) ଉପନାମ ଅଟେ। ଏହି ମାନଙ୍କର ଅବସ୍ଥିତି ଓଡ଼ିଶା ସାରା ଦେଖିବାକୁ ମିଳିଥାଏ। ଦାଶ ଏକ ଏଭଳି ସ୍ୱତନ୍ତ୍ର ଓଡ଼ିଆ ଉପନାମ ଯାହାକି ଖାଲି ଓଡ଼ିଶାରେ ହିଁ ଦେଖିବକୁ ମିଳିଥାଏ ଓ ଏହା ଉତ୍କଳ ବ୍ରାହ୍ମଣ ବଂଶକୁ ସୁଚାଇ ଥାଏ। ଏହି ଉପନାମ ଧାରୀ ବୈଦିକଧର୍ମ ଅନ୍ତର୍ଗତ ଶ୍ରୌତ ପରମ୍ପରାର ପାଳନ କରନ୍ତି। କୌଶିକୠଷିଙ୍କ ବଂଶଧର ହୋଇଥିବା ହେତୁ ଏହିମାନଙ୍କର ଗୋତ୍ର କୌଶିକ ଅଟେ।ତଥାପି ଏହି ବର୍ଗ ମଧ୍ୟରେ ବତ୍ସସ୍ୟ,ଭାରଦ୍ୱାଜ,କୌଣ୍ଡିନ୍ୟ,ହାରିତସ୍ୟ ଆଦି ଗୋତ୍ର ଦେଖିବାକୁ ମିଳିଥାଏ। ଦାଶ ଉପନାମଟି ଦୁଇଟି ଶବ୍ଦ ସମ୍ମିଶ୍ରଣ ଅଟେ, ତାହା ହେଉଛି ଦାନ ଓ ଇଶ (ଦାନ+ଇଶ=ଦାଶ)।
ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ମୟୁର କର୍ଷକ ବର୍ଗର ଏକ ପକ୍ଷୀ ବିଶେଷ । ମୟୂର ପ୍ରଜାତିର ପୁରୁଷପକ୍ଷୀକୁ ମୟୂର ଓ ସ୍ତ୍ରୀ ପକ୍ଷୀକୁ ମୟୂରୀ କୁହାଯାଏ । ମୟୂରର ଲାଞ୍ଜ ଖୁବ ବଡ଼ ହୋଇଥିବାରୁ ତାହାକୁ ଲୋକୋକ୍ତିରେ ଲଞ୍ଜା ମୟୁର ଏବଂ ମୟୂରୀର ଲାଞ୍ଜ ଛୋଟ ହେଇଥିବାରୁ ତାହାକୁ ଲାଣ୍ଡୀ ମୟୂର ବୋଲି ମଧ୍ୟ କୁହାଯାଏ । ମୟୂରର ଲାଞ୍ଜର ବଡ଼ ପକ୍ଷ ଓ କଣ୍ଠର କ୍ଷୁଦ୍ର ପର ନାନା ବର୍ଣ୍ଣରେ ରଞ୍ଜିତ । ମୟୂରୀର ପରର ରଙ୍ଗ ମୟୁର ତୁଳନାରେ ଅପେକ୍ଷା କୃତ ମ୍ଲାନ ହେଲେହେଁ ମୟୂର ପରି ମୟୂରୀ ମଧ୍ୟ ସମମାତ୍ରାରେ ଆକର୍ଷଣୀୟ । ଏଣୁ ଏହି ପକ୍ଷୀ ପ୍ରଜାତି କାଳେ କାଳେ ବିଶ୍ୱର ବିହଙ୍ଗ ବିବିଧତା ମଧ୍ୟରେ ପ୍ରମୁଖତା ପାଇଆସିଛି। । ଏହା ସଂସ୍କୃତ ମି ଧାତୁରୁ ଉର୍ ପ୍ରତ୍ୟୟଦ୍ୱାରା ନିଷ୍ପନ୍ନ । ମିର ଅର୍ଥ କ୍ଷେପଣକରିବା ବୋଲି ଭାଷାକୋଷ ଲେଖିଥିଲେହେଁ ଏହାର ପ୍ରକୃତ ଅର୍ଥ ମାରିପକାଇବା । ମୟୂରର ଏକ ବିଶେଷତ୍ୱ ହେଉଛି, ପ୍ରାଣନାଶକାରୀ ବିଷଧର ସର୍ପକୁ ସେ ମାରିପକାଏ । ସେଥିପାଇଁ ହିଁ ମି ଧାତୁର ଉର୍ ପ୍ରତ୍ୟୟ ଯୋଗରେ ମୟୁର ଶବ୍ଦର ସୃଷ୍ଟି ହୋଇଛି । ଭାଷାକୋଷ ଅନୁସାରେ ମୟୂରର ଅନ୍ୟନାମ କେକୀ, ଶିଖି, ଶିଖଣ୍ଡୀ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।
ଜର୍ଜ ସାଇମନ ଓମ (German: [oːm]; ୧୬ ମାର୍ଚ୍ଚ ୧୭୮୯ - ୬ ଜୁଲାଇ ୧୮୫୪) ଜଣେ ଜର୍ମାନ ପଦାର୍ଥ ବିଜ୍ଞାନୀ ଓ ଗାଣିତିକ ଥିଲେ । ସେ "ଓମ'ଙ୍କ ନିୟମ" ପାଇଁ ଜଣାଶୁଣା । ଜଣେ ସ୍କୁଲ ଶିକ୍ଷକ ଭାବେ ଓମ ଆଲେସାଣ୍ଡ୍ରୋ ଭୋଲଟାଙ୍କଦ୍ୱାରା ଉଦ୍ଭାବିତ ଇଲେକ୍ଟ୍ରୋକେମିକାଲ ସେଲ ଉପରେ ଗବେଷଣା ଆରମ୍ଭ କରିଥିଲେ । ନିଜ ତିଆରି ଯନ୍ତ୍ରପାତି ବ୍ୟବହାର କରି ଓମ ଏକ ନିର୍ଦ୍ଧିଷ୍ଠ ତାପମାତ୍ରାରେ ପରିବାହୀରେ ପ୍ରବାହିତ ବିଦ୍ୟୁତ ଶକ୍ତି ପରିବାହୀର ଦୁଇ ପ୍ରାନ୍ତରେ ଥିବା ବିଦ୍ୟୁତ ବିଭବ ପାର୍ଥକ୍ୟ ସହିତ ସମାନୁପାତୀ ଓ ପରିବାହୀର ପ୍ରତିରୋଧ ସହିତ ପ୍ରତିଲୋମାନୁପାତୀ ବୋଲି ଆବିଷ୍କାର କରିଥିଲେ । ଏହା ଓମ'ଙ୍କ ନିୟମ ଭାବେ ଜଣାଶୁଣା ।
ଆର୍ତ୍ତବଲ୍ଲଭ ମହାନ୍ତି (୩୦ ଜୁଲାଇ ୧୮୮୭–୩୦ ସେପ୍ଟେମ୍ବର ୧୯୬୩) ଜଣେ ଓଡ଼ିଆ ଲେଖକ, ଶିକ୍ଷାବିତ୍ ଓ ପ୍ରଫେସର ଥିଲେ । ସେ ପ୍ରାଚୀ ସମିତିର ପ୍ରତିଷ୍ଠାତା ଥିଲେ । ପୁରାତନ ଓଡ଼ିଆ ରଚନାବଳୀରେ ଥିବା ଶୁଦ୍ଧ ସଂସ୍କରଣର ଅଭାବ ଦେଖି ସେ ନିଜେ ଅନେକ ପୋଥି ପଢ଼ି ଓ ଗବେଷଣା କରି ବିଦଗ୍ଧ ଚିନ୍ତାମଣି, ମଥୁରା ମଙ୍ଗଳ ସମେତ ଅନ୍ୟାନ୍ୟ ଗ୍ରନ୍ଥର ଶୁଦ୍ଧ ସଂସ୍କରଣ ପ୍ରାଚୀ ସମିତିଦ୍ୱାରା ପ୍ରକାଶ କରିଥିଲେ । ପରବର୍ତ୍ତୀ ସମୟରେ ପ୍ରାଚୀ ସମିତି ତାହାର ପ୍ରକାଶିତ ଅନେକ ପୁରୁଣା ଗ୍ରନ୍ଥ ଓ ତାଳପତ୍ର ପୋଥିଗୁଡ଼ିକ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଅର୍ପଣ କରିଥିଲା । ଉତ୍କଳ ବିଶ୍ୱବିଦ୍ୟାଳୟ ଏଗୁଡ଼ିକୁ ପ୍ରାଚୀ ଗ୍ରନ୍ଥମାଳା ନାମରେ ପ୍ରକାଶିତ କରିଥିଲା । ଭାରତ ସରକାର ତାଙ୍କୁ ୧୯୬୦ ମସିହାରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରିଥିଲା । ଏହା ପୂର୍ବରୁ ସେ ୧୯୩୨ରେ ରାୟ ସାହେବ ଓ ୧୯୪୩ରେ ରାୟ ବାହାଦୁରରେ ଉପାଧୀ ମଧ୍ୟ ପାଇଥିଲେ ।