ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କଳାପାହାଡ଼ ନାମରେ ବଙ୍ଗଳାର ମୋଗଲ ଶାସକ ସୁଲତାନ ସୁଲେମାନ କିର୍ରାନିଙ୍କର (Sulaiman Karrani) ଜଣେ ସେନାପତିଙ୍କୁ ଡକାଯାଉଥିଲା । କେତେକ ଐତିହାସିକ ତଥ୍ୟରୁ ଜଣାଯାଏ, ସେ କଳିଙ୍ଗ-ଉତ୍କଳର ଶେଷ ସମ୍ରାଟ ମୁକୁନ୍ଦଦେବଙ୍କର ହିନ୍ଦୁ (ଓଡ଼ିଆ)ସେନାପତି ଥିଲେ, ଜାତିରେ କାୟସ୍ଥ ଥିଲେ ଓ ତାଙ୍କର ନାମ ରାଜିବ ଲୋଚନ ରାୟ ଥିଲା । ଧର୍ମ ପରିବର୍ତ୍ତନ କରି ସେ ମୁସଲମାନ ହେଲେ। ସେଖ୍ କବିର ବାତିନିଙ୍କର ମତରେ କଳାପାହାଡ଼ ଆଫଗାନ ଲୋକ ଥିଲେ । ଲୋକମୁଖରେ ସେ କଳାପାହାଡ଼ ନାମରେ ପରିଚିତ ଥିଲେ । ଓଡ଼ିଶାର କେତେକ ସ୍ଥାନ ସେ ବଙ୍ଗଳାର ଆଫଗାନ ଶାସକଙ୍କ ନିମନ୍ତେ ଦଖଲ କରିଥିଲେ ।କଳା ପାହାଡ ବହୁତ ନିଷ୍ଠୁର ଥିଲେ ସେ ଆକବରଙ୍କ ବାପାଙ୍କ ମାଉସୀ ପୁଅର ପୁଅ ଥିଲେ
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି Akash Das Nayak ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ମୟୁର କର୍ଷକ ବର୍ଗର ଏକ ପକ୍ଷୀ ବିଶେଷ । ମୟୂର ପ୍ରଜାତିର ପୁରୁଷପକ୍ଷୀକୁ ମୟୂର ଓ ସ୍ତ୍ରୀ ପକ୍ଷୀକୁ ମୟୂରୀ କୁହାଯାଏ । ମୟୂରର ଲାଞ୍ଜ ଖୁବ ବଡ଼ ହୋଇଥିବାରୁ ତାହାକୁ ଲୋକୋକ୍ତିରେ ଲଞ୍ଜା ମୟୁର ଏବଂ ମୟୂରୀର ଲାଞ୍ଜ ଛୋଟ ହେଇଥିବାରୁ ତାହାକୁ ଲାଣ୍ଡୀ ମୟୂର ବୋଲି ମଧ୍ୟ କୁହାଯାଏ । ମୟୂରର ଲାଞ୍ଜର ବଡ଼ ପକ୍ଷ ଓ କଣ୍ଠର କ୍ଷୁଦ୍ର ପର ନାନା ବର୍ଣ୍ଣରେ ରଞ୍ଜିତ । ମୟୂରୀର ପରର ରଙ୍ଗ ମୟୁର ତୁଳନାରେ ଅପେକ୍ଷା କୃତ ମ୍ଲାନ ହେଲେହେଁ ମୟୂର ପରି ମୟୂରୀ ମଧ୍ୟ ସମମାତ୍ରାରେ ଆକର୍ଷଣୀୟ । ଏଣୁ ଏହି ପକ୍ଷୀ ପ୍ରଜାତି କାଳେ କାଳେ ବିଶ୍ୱର ବିହଙ୍ଗ ବିବିଧତା ମଧ୍ୟରେ ପ୍ରମୁଖତା ପାଇଆସିଛି। । ଏହା ସଂସ୍କୃତ ମି ଧାତୁରୁ ଉର୍ ପ୍ରତ୍ୟୟଦ୍ୱାରା ନିଷ୍ପନ୍ନ । ମିର ଅର୍ଥ କ୍ଷେପଣକରିବା ବୋଲି ଭାଷାକୋଷ ଲେଖିଥିଲେହେଁ ଏହାର ପ୍ରକୃତ ଅର୍ଥ ମାରିପକାଇବା । ମୟୂରର ଏକ ବିଶେଷତ୍ୱ ହେଉଛି, ପ୍ରାଣନାଶକାରୀ ବିଷଧର ସର୍ପକୁ ସେ ମାରିପକାଏ । ସେଥିପାଇଁ ହିଁ ମି ଧାତୁର ଉର୍ ପ୍ରତ୍ୟୟ ଯୋଗରେ ମୟୁର ଶବ୍ଦର ସୃଷ୍ଟି ହୋଇଛି । ଭାଷାକୋଷ ଅନୁସାରେ ମୟୂରର ଅନ୍ୟନାମ କେକୀ, ଶିଖି, ଶିଖଣ୍ଡୀ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ନୂଆ ଦିଲ୍ଲୀ ହେଉଛି ଭାରତର ରାଜଧାନୀ ଓ ବୃହତ୍ତମ ମହାନଗର । ୧୯୩୧ ଫେବୃଆରୀ ୧୩ରେ ନୂଆଦିଲ୍ଲୀ ଭାରତର ରାଜଧାନୀ ଭାବେ ଆତ୍ମପରିପ୍ରକାଶ କରିଥିଲା ।୧୯୧୧ ଡିସେମ୍ବର ୧୫ରେ ନୂଆ ରାଜଧାନୀର ଶିଳାନ୍ୟାସ ହୋଇଥିଲା । ବିଂଶ ଶତାବ୍ଦୀର ଦୁଇ ବ୍ରିଟିଶ ସ୍ଥପତି ସାର୍ ହର୍ବର୍ଟ ବ୍ରେକର ଏହାର ମୂଳଦୂଆ ପ୍ରତିଷ୍ଠା କରିଥିଲେ । ୧୯୨୭ରେ ଏହାର ନାମ ନୂଆଦିଲ୍ଲୀ ରଖାଯାଇଥିଲା । ତତକାଳୀନ ବ୍ରିଟିଶ ଇଣ୍ଡିଆର ଭାଇସରୟ ଲର୍ଡ ଇରୱ୍ଇନ ନୂଆ ରାଜଧାନୀର ଶୁଭ ଉଦଘାଟନ କରିଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ରକ୍ତ ହେଉଛି ଏକ ପ୍ରକାର ସଂଯୋଜକ ତନ୍ତୁ । ଏହାର ଅନ୍ତର୍ଗତ ଜୀବକୋଷଗୁଡ଼ିକୁ ରକ୍ତ କୋଷ ବା ରକ୍ତକଣିକା (Blood Corpuscles) କୁହାଯାଏ। ଏହି କଣିକାଗୁଡ଼ିକ ରକ୍ତରେ ଏକ ତରଳ ପଦାର୍ଥରେ ଭାସୁଥାନ୍ତି, ସେହି ତରଳ ପଦାର୍ଥକୁ ପ୍ରଲସି (plasma) କୁହାଯାଏ । ତେଣୁ ସାଧାରଣ ଭାବରେ ବୁଝିବାକୁ ଗଲେ ରକ୍ତ ହେଉଛି ମୁଖ୍ୟତଃ ପ୍ରଲସି ଓ ରକ୍ତ କଣିକାର ସମଷ୍ଟି । ରକ୍ତ ଏକ ଅଠାଳିଆ ତରଳ ପଦାର୍ଥ ଯାହାର ସ୍ୱାଦ ଲୁଣିଆ ଓ ଗନ୍ଧ ଆଇଁଷିଣିଆ । ଏହାର ରଙ୍ଗ ଲାଲ ହୋଇଥିଲେ ମଧ୍ୟ କେତେକ ପରିସ୍ଥିତିରେ ଏହାର ରଙ୍ଗରେ ପାର୍ଥକ୍ୟ ଦେଖାଯାଇଥାଏ । ଅଣୁବୀକ୍ଷଣ ସାହାଯ୍ୟରେ ରକ୍ତକୁ ପରୀକ୍ଷା କଲେ ସେଥିରେ ଥିବା କଣିକାଗୁଡ଼ିକ ଦେଖାଯାନ୍ତି।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ଭାରତ)
ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC India), ଭାରତ ସରକାରଙ୍କ ଏକ ସାମ୍ବିଧାନିକ ସଂସ୍ଥାନ । ଏହା ଇଉଜିସି ଆକ୍ଟ–୧୯୫୬ଦ୍ୱାରା ଭାରତର ମାନବ ସମ୍ବଳ ବିକାଶ ବିଭାଗ ଅଧୀନରେ ସ୍ଥାପିତ ହୋଇ ଦେଶରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସହଯୋଗ, ନିର୍ଣାୟ ଓ ମାନ ରକ୍ଷଣ ଦିଗରେ କାର୍ଯ୍ୟ କରିଥାଏ । ଏହି ପ୍ରତିଷ୍ଠାନ ଭାରତର ବିଶ୍ୱବିଦ୍ୟାଳୟମାନଙ୍କୁ ସ୍ୱୀକୃତି ପ୍ରଦାନ କରିବା ସହ ସ୍ୱୀକୃତି ପ୍ରାପ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ମାନଙ୍କୁ ଅନୁଦାନ ରାଶି ବଣ୍ଟନର ବ୍ୟବସ୍ଥା କରିଥାଏ । ଏହାର ମୁଖ୍ୟାଳୟ ନୂଆ ଦିଲ୍ଲୀ ଠାରେ ଅବସ୍ଥିତ ଓ ଏହାର ୬ ଗୋଟି ଆଞ୍ଚଳିକ କାର୍ଜ୍ୟାଳୟ ପୁନେ, ଭୋପାଲ, କଲିକତା, ହାଇଦରାବାଦ, ଗୁଆହାଟୀ ଓ ବାଙ୍ଗାଲୋରଠାରେ ରହିଛି । ପ୍ରଫେସର ବେଦ ପ୍ରକାଶ ଏହାର ପ୍ରଥମ ଚେୟାର ମେନ ଭାବରେ ଅଧିଷ୍ଠିତ ହେଇଥିଲେ ।
କବାଡି ଭାରତର ବିଭିନ୍ନ ଅଞ୍ଚଳରେ ଖେଳା ଯାଉଥିବା ଏକ ଲୋକପ୍ରିୟ ଖେଳ । ଏହା ସର୍ବପ୍ରଥମେ ଭାରତରୁ ଆରମ୍ଭ ହୋଇଥିବାର ନଜିର ରହିଛି । ଭାରତରେ ବିଭିନ୍ନ ପର୍ବ ପାଳନ ଅବସରରେ ତଥା ଅନ୍ୟ ସମୟରେ ଆମୋଦ ପାଇଁ ମଧ୍ୟ ଖେଳା ଯାଇଥାଏ । ଭାରତ ଛଡା ବିଭିନ୍ନ ସ୍ଥାନରେ ଏହି ଖେଳକୁ ଭିନ୍ନ ଭିନ୍ନ ଆଞ୍ଚଳିକ ନାମରେ ଲୋକମାନେ ଜାଣନ୍ତି । ବଙ୍ଗଳାଦେଶରେ ଏହି ଖେଳକୁ ହୁହୁଡୁ , ମାଳଦ୍ୱୀପରେ ଏହାକୁ ବାନାଟି , ଆନ୍ଧ୍ରପ୍ରଦେଶରେ ଏହାକୁ ଚୀଡୁଗୁଡୁ , ତାମିଲନାଡୁରେ ସାଡୁଗୁଡୁ ଆଦି ନାମରେ ଜଣାଯାଇଥାଏ । ଏହି ଖେଳଟି ବଙ୍ଗଳାଦେଶରେ ଜାତୀୟ ଖେଳ ଭାବରେ ଆଦୃତ ହୋଇଛି । ଏହାକୁ ଅଧିକ ଲୋକପ୍ରିୟ କରିବା ପାଇଁ ଏବେ ଭାରତରେ ଜାତୀୟ ସ୍ତରରେ ପ୍ରୋ କବାଡି ଲିଗ(Pro Kabaddi League) ଆୟୋଜନ କରାଯାଉଛି । ଯଦିଓ ଏହାର ନାମର ଉତ୍ପତ୍ତିକୁ ନେଇ ସେପରି କିଛି ନିର୍ଦ୍ଧିଷ୍ଟ ପ୍ରମାଣ ଆଜିଯାଏଁ ମିଳି ପାରିନାହିଁ , ତଥାପି ଉତ୍ତର ଭାରତରୁ ଏହାର ଉତ୍ପତ୍ତି ବିଷୟରେ ସୂଚନା ମିଳେ । ତାମିଲ ଶବ୍ଦ "କାଭିଡି"(ତାମିଲ ଅର୍ଥ ଅଧା ନଇଁ କରି ଖେଳିବାକୁ ବୁଝାଏ) କିମ୍ବା "କାଇ-ପିଡି"(ହାତକୁ ହାତ ଧରିକରି ଖେଳିବାକୁ ବୁଝାଏ )ରୁ "କବାଡି'" ଶବ୍ଦ ଆସିଥିବା ଅନୁମାନ କରାଯାଏ ।
ଭାରତୀୟ ଲୋଟଣୀ, ଭଦଭଦଳିଆ ଚଢ଼େଇ ଓଡ଼ିଶାର ଗର୍ବ ଓ ସଙ୍କେତ ଅଟେ । ଏହାକୁ ଓଡ଼ିଶାର ରାଜ୍ୟ ପକ୍ଷୀ (State Bird of Odisha) ଭାବେ ଘୋଷଣା କରାଯାଇଅଛି । ଏହି ପକ୍ଷୀ ମୁଖ୍ୟତଃ ଭାରତୀୟ ଉପମହାଦେଶରେ ଦେଖିବାକୁ ମିଳିଥାଏ । ଏହାଛଡା ଥାଇଲାଣ୍ଡ ଓ ଇରାକରେ ମଧ୍ୟ ଏମାନେ ଦେଖା ଯାଆନ୍ତି । ଭାରତର ଅନେକ ରାଜ୍ୟ ଏହି ପକ୍ଷୀକୁ ସେମାନଙ୍କର ରାଜ୍ୟ ପକ୍ଷୀ ଭାବେ ଘୋଷଣା କରିଛନ୍ତି ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଓଡ଼ିଶୀ ସଙ୍ଗୀତ (ଇଂରାଜୀ: Odissi music, oṛiśī) ଓଡ଼ିଶାର ନିଜସ୍ୱ ଶାସ୍ତ୍ରୀୟ ସଙ୍ଗୀତ ପରମ୍ପରା ଅଟେ । ଏହା ଶ୍ରୀମନ୍ଦିର ଓ ଶ୍ରୀ ଜଗନ୍ନାଥ ଙ୍କ ସେବାର ସଙ୍ଗୀତ। ଓଡ଼ିଶୀ ସଙ୍ଗୀତର ନିଜସ୍ୱ ସୁଦୀର୍ଘ ପରମ୍ପରା, ରାଗ ରାଗିଣୀ ଓ ଗାୟନ ପରମ୍ପରା ଇତ୍ୟାଦି ସ୍ୱତନ୍ତ୍ର ଭାବେ ପ୍ରାଚୀନ କାଳରୁ ରହିଅଛି । ଭରତ ମୁନିଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତର ଚାରୋଟି ଶାଖା; ଆବନ୍ତୀ, ପାଞ୍ଚାଳୀ, ଉଡ୍ରମାଗଧୀ ବା ଓଡ୍ର, ଦାକ୍ଷିଣାତ୍ୟା । ଏହି ମଧ୍ୟରୁ ଓଡ଼ିଶୀ ଓଡ୍ରମାଗଧୀ ଧାରା ଅଟେ । ୧୨ଶ ଶତାବ୍ଦୀ କବିରାଜ ଜୟଦେବଙ୍କ ସମୟରୁ ଓଡ଼ିଶୀ ସଙ୍ଗୀତ ସମୁନ୍ନତ ସଙ୍ଗୀତ ପରମ୍ପରା ଭାବେ ଜାତୀୟ ସ୍ତରରେ ପରିଚିତ ହୋଇଅଛି । ଉଲ୍ଲେଖଯୋଗ୍ୟ ଯେ ଓଡ଼ିଶୀ ସଙ୍ଗୀତ ଓଡ଼ିଆ ଭାଷାର ବିକାଶ ହେବା ଆଗରୁ ରହିଥିଲା । ଖ୍ରୀ.ପୂ.