ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି Akash Das Nayak ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ଭାରତ)
ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC India), ଭାରତ ସରକାରଙ୍କ ଏକ ସାମ୍ବିଧାନିକ ସଂସ୍ଥାନ । ଏହା ଇଉଜିସି ଆକ୍ଟ–୧୯୫୬ଦ୍ୱାରା ଭାରତର ମାନବ ସମ୍ବଳ ବିକାଶ ବିଭାଗ ଅଧୀନରେ ସ୍ଥାପିତ ହୋଇ ଦେଶରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସହଯୋଗ, ନିର୍ଣାୟ ଓ ମାନ ରକ୍ଷଣ ଦିଗରେ କାର୍ଯ୍ୟ କରିଥାଏ । ଏହି ପ୍ରତିଷ୍ଠାନ ଭାରତର ବିଶ୍ୱବିଦ୍ୟାଳୟମାନଙ୍କୁ ସ୍ୱୀକୃତି ପ୍ରଦାନ କରିବା ସହ ସ୍ୱୀକୃତି ପ୍ରାପ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ମାନଙ୍କୁ ଅନୁଦାନ ରାଶି ବଣ୍ଟନର ବ୍ୟବସ୍ଥା କରିଥାଏ । ଏହାର ମୁଖ୍ୟାଳୟ ନୂଆ ଦିଲ୍ଲୀ ଠାରେ ଅବସ୍ଥିତ ଓ ଏହାର ୬ ଗୋଟି ଆଞ୍ଚଳିକ କାର୍ଜ୍ୟାଳୟ ପୁନେ, ଭୋପାଲ, କଲିକତା, ହାଇଦରାବାଦ, ଗୁଆହାଟୀ ଓ ବାଙ୍ଗାଲୋରଠାରେ ରହିଛି । ପ୍ରଫେସର ବେଦ ପ୍ରକାଶ ଏହାର ପ୍ରଥମ ଚେୟାର ମେନ ଭାବରେ ଅଧିଷ୍ଠିତ ହେଇଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
କଳାପାହାଡ଼ ନାମରେ ବଙ୍ଗଳାର ମୋଗଲ ଶାସକ ସୁଲତାନ ସୁଲେମାନ କିର୍ରାନିଙ୍କର (Sulaiman Karrani) ଜଣେ ସେନାପତିଙ୍କୁ ଡକାଯାଉଥିଲା । କେତେକ ଐତିହାସିକ ତଥ୍ୟରୁ ଜଣାଯାଏ, ସେ କଳିଙ୍ଗ-ଉତ୍କଳର ଶେଷ ସମ୍ରାଟ ମୁକୁନ୍ଦଦେବଙ୍କର ହିନ୍ଦୁ (ଓଡ଼ିଆ)ସେନାପତି ଥିଲେ, ଜାତିରେ କାୟସ୍ଥ ଥିଲେ ଓ ତାଙ୍କର ନାମ ରାଜିବ ଲୋଚନ ରାୟ ଥିଲା । ଧର୍ମ ପରିବର୍ତ୍ତନ କରି ସେ ମୁସଲମାନ ହେଲେ। ସେଖ୍ କବିର ବାତିନିଙ୍କର ମତରେ କଳାପାହାଡ଼ ଆଫଗାନ ଲୋକ ଥିଲେ । ଲୋକମୁଖରେ ସେ କଳାପାହାଡ଼ ନାମରେ ପରିଚିତ ଥିଲେ । ଓଡ଼ିଶାର କେତେକ ସ୍ଥାନ ସେ ବଙ୍ଗଳାର ଆଫଗାନ ଶାସକଙ୍କ ନିମନ୍ତେ ଦଖଲ କରିଥିଲେ ।କଳା ପାହାଡ ବହୁତ ନିଷ୍ଠୁର ଥିଲେ ସେ ଆକବରଙ୍କ ବାପାଙ୍କ ମାଉସୀ ପୁଅର ପୁଅ ଥିଲେ
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ରାଇମୋହନ ପରିଡ଼ା (୧୦ ଜୁଲାଇ ୧୯୬୩ - ୨୪ ଜୁନ ୨୦୨୨) ଓଡ଼ିଶାରେ ଜନ୍ମଗ୍ରହଣ କରିଥିବା ଓଡ଼ିଆ କଥାଚିତ୍ର ଓ ଯାତ୍ରା ଜଗତର ଜଣେ ଜଣେ ଖଳ ଅଭିନେତା ଥିଲେ । ୧୯୮୪ ମସିହାରେ ଗଙ୍ଗ ଶିଉଳି ଚଳଚ୍ଚିତ୍ର ଜରିଆରେ ସେ ଓଡ଼ିଆ କଥାଚିତ୍ର ଜଗତରେ କାମ କରିବା ଆରମ୍ଭ କରିଥିଲେ । ସେ ଯାତ୍ରା ଜଗତର ଅନେକ ନାଟକର ନିର୍ଦ୍ଦେଶନା ଦେବା ସହିତ କିଛି ଯାତ୍ରାପାର୍ଟିରେ ଅଭିନୟ ମଧ୍ୟ କରିଥିଲେ । ୨୪ ଜୁନ ୨୦୨୨ରେ ସେ ଆତ୍ମହତ୍ୟା କରିଥିଲେ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ଼ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଆତ୍ମହତ୍ୟାର ଏହାର ଅର୍ଥ ସ୍ୱେଚ୍ଛାରେ ନିଜକୁ ହତ୍ୟା କରିବା ଓ ଏହାକୁ ସୁଇସାଇଡ (ଇଂରାଜୀ ଭାଷାରେ suicide) ମଧ୍ୟ କୁହାଯାଏ ।. ଏହାର ସଙ୍କଟ ଜନକ ଅବସ୍ଥାମାନଙ୍କ ନାମ ମାନସିକ ବେମାରୀ ଅବସାଦ, ସିଜୋଫ୍ରେନିଆ, ମଦ୍ୟାତ୍ୟୟ, ନିଶା ଦ୍ରବ୍ୟ ସେବନ, ବାଇପୋଲାର ଡିଜଅଡର ଇତ୍ୟାଦି । ଅନ୍ୟ କାରକମାନଙ୍କ ନାମ ଚାପ ଜନିତ ଆବେଗ ଯାହା ଅର୍ଥନୈତିକ ସମସ୍ୟା, ସମ୍ପର୍କ ସମସ୍ୟା ବା ଭୟ । ପୂର୍ବରୁ ଆତ୍ମହତ୍ୟା ଚେଷ୍ଟା ଥିଲେ ଭବିଷ୍ୟତ ସଙ୍କଟ ଅଧିକ ରହେ । ବର୍ଡର ଲାଇନ ପର୍ସନାଲିଟି ଡିଜ୍ଅର୍ଡର ଓ ମ୍ୟାନିକ୍ ଡିପ୍ରେସନ ଯୋଗୁ ହତାଶା ହୁଏ ଓ ଏହାଦ୍ୱାରା ଆତ୍ମହତ୍ୟା ହୁଏ । ଆତ୍ମହତ୍ୟା ପ୍ରତିରୋଧ ନିମନ୍ତେ ଆଗ୍ନେୟାସ୍ତ୍ର ଓ ବିଷ ଅପହଞ୍ଚ, ମାନସିକ ବେମାରୀର ଚିକିତ୍ସା, ଡ୍ରଗ ଅପବ୍ୟବହାର, ଅର୍ଥନୀତିରେ ସୁଧାର ଓ ମିଡିଆ ରିପୋର୍ଟ ଅତି ଆବଶ୍ୟକ । ସାଧାରଣତଃ କ୍ରାଇସିସ୍ ହଟ୍ ଲାଇନ (ଫୋନ୍ ଯୋଗେ ପରାମର୍ଶ) ବ୍ୟବହାର କରାଯାଉଥିଲେ ମଧ୍ୟ ଏହାର କାର୍ଯ୍ୟକାରୀତା ବିଷୟରେ ପ୍ରମାଣ ବିଶେଷ ନାହିଁ । ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପ୍ରକାର ଆତ୍ମହତ୍ୟା ଦେଖାଯାଏ । ସାଧାରଣତଃ ବେକ ଝୁଲେଇବା (Hanging), ପୋକମରା ଔଷଧ ସେବନ ଓ ଆଗ୍ନେୟାସ୍ତ୍ରଦ୍ୱାରା ଏହା ସମ୍ଭବ ହୁଏ । ପ୍ରତିବର୍ଷ ପ୍ରାୟ ୮୦୦,୦୦୦ରୁ ଏକ ନିୟୁତ ଲୋକ ଏହି ଭାବରେ ମରନ୍ତି ଓ ଏହା ପୃଥିବୀରେ ମୃତ୍ୟୁର ଦଶମ କାରଣ ରୂପେ ପରିଚିତ । ପୁରୁଷ ଆତ୍ମହତ୍ୟା ସଂଖ୍ୟା ମହିଳାଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ । ସନ ୧୯୯୦ରେ ୭୧୨,୦୦୦ ଆତ୍ମହତ୍ୟା ମୃତ୍ୟୁ ହୋଇଥବା ବେଳେ ୨୦୧୩ରେ ୮୪୨,୦୦୦ ମୃତ୍ୟୁ ହୋଇଥିଲା । ୧୦ରୁ ୨୦ ନିୟୁତ ଆତ୍ମଘାତୀ ଚେଷ୍ଟା ପ୍ରତି ବର୍ଷ ହୁଏ ଯାହା ଫଳପ୍ରଦ ହୋଇପାରି ନ ଥାଏ । ଯୁବକମାନେ ମହିଳାମାନଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ ଆତ୍ମହତ୍ୟା ଚେଷ୍ଟା କରନ୍ତି । ଅଣ-ମାରାତ୍ମକ ଆତ୍ମହତ୍ୟା ପ୍ରଚେଷ୍ଟଦ୍ୱାରା ଆଘାତ ଓ ଦୀର୍ଘସ୍ଥାୟୀ ଅକ୍ଷମତା ଦେଖାଯାଏ । ୧୫-୨୯ ବର୍ଷ ବୟସ୍କଙ୍କ ମଧ୍ୟରେ ଆତ୍ମହତ୍ୟା ହିଁ ମୃତ୍ୟୁର ଦ୍ୱିତୀୟ ବଡ଼ କାରଣ ବୋଲି ମଙ୍ଗଳବାର, ୧୧ ସେପ୍ଟେମ୍ବର ୨୦୧୮ ମିଳିତ ଜାତିସଂଘ ନିଜର ଏକ ରିପୋର୍ଟରେ ଉଲ୍ଲେଖ କରିଥିଲା। ଲାନ୍ସେଟ୍ ପବ୍ଲିକ୍ ହେଲ୍ଥ ଜର୍ନାଲ୍ରେ ‘ଦି ଗ୍ଲୋବାଲ୍ ବର୍ଡନ୍ ଅଫ୍ ଡିଜିଜ୍ ଷ୍ଟଡିଜ୍ ୧୯୯୦-୨୦୧୬’ ଶୀଷର୍କରେ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି ଯେ, ବିଶ୍ୱବ୍ୟାପୀ ଘଟୁଥିବା ଆତ୍ମହତ୍ୟାର ୩୭% ପୁରୁଷ କେବଳ ଭାରତୀୟ ଏବଂ ୨୪% ମହିଳା ଚରମ ପଦକ୍ଷେପ ନେଇଥାନ୍ତି । ୧୫-୩୯ ବର୍ଷ ବୟସ୍କଙ୍କ ଆତ୍ମହତ୍ୟାରେ ଭାରତ ବିଶ୍ୱସ୍ତରରେ ତୃତୀୟ । ୧୯୯୦ରୁ ୨୦୧୬ ମଧ୍ୟରେ ଦେଶରେ ଆତ୍ମହତ୍ୟା ଜନିତ ମୃତ୍ୟୁସଂଖ୍ୟା ୪୦% ବଢ଼ିଛି । କେବଳ ୨୦୧୬ରେ ଭାରତରେ ୨,୩୦,୩୧୪ ଲୋକ ଆତ୍ମହତ୍ୟା କରିଛନ୍ତି । କର୍ନାଟକ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ ଏବଂ ତ୍ରିପୁରାରେ ଉଭୟ ପୁରୁଷ ଏବଂ ମହିଳାଙ୍କ କ୍ଷେତ୍ରରେ ଆତ୍ମହତ୍ୟା ହାର ସବୁଠାରୁ ଅଧିକ । କେରଳ, ଛତିଶଗଡ଼ରେ ଅଧିକ ପୁରୁଷ ଆମହତ୍ୟା କରିଥାନ୍ତି । ଭାରତରେ ପ୍ରତି ୧ଲକ୍ଷରେ ୧୫% ମହିଳା ଆତ୍ମହତ୍ୟା କରିଥାନ୍ତି। କେତେକ ଚିନ୍ତାଧାରା ଆତ୍ମହତ୍ୟା ପ୍ରରୋଚନା କରେ ଯଥା: ସମ୍ମାନ (Honour), ଧର୍ମ ଓ ଜୀବନର ମୂଲ୍ୟବୋଧ । ଆବ୍ରାହମ ଧର୍ମ ଅନୁଯାୟୀ ଜୀବନ ପବିତ୍ର, ତେଣୁ ଏହାକୁ ତ୍ୟାଗ କରିବା ପ୍ରଭୁଙ୍କ ପ୍ରତି ଅପରାଧ କରିବା ସଙ୍ଗେ ସମାନ । ଜାପାନର ସମୁରାଇ ଯୁଗରେ ଏହା (ସେପୁକୁ ବା ଆତ୍ମହତ୍ୟା) ଭୁଲର ପ୍ରାୟଶ୍ଚିତ କିମ୍ବା ପ୍ରତିବାଦ ରୁପେ ଗଣା ହେଉଥିଲା ।. ଆଇନ ବହିର୍ଭୂତ ସତୀ ଦାହ ପ୍ରଥାରେ ବିଧବାମାନେ ସ୍ୱଇଛାରେ ବା ପରିବାରର ପ୍ରରୋଚନାରେ ନିଜକୁ ଚିତାରେ ବିସର୍ଜନ କରୁଥିଲେ ।ପଶ୍ଚିମ ଦେଶମାନଙ୍କରେ ଆଗେ ଆତ୍ମହତ୍ୟା ଚେଷ୍ଟା ଦଣ୍ଡନୀୟ ଅପରାଧ ଥିଲା କିନ୍ତୁ ଏବେ ଅଧିକାଂଶ ଦେଶରେ ତାହା ନାହିଁ ।.
ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ମୟୁର କର୍ଷକ ବର୍ଗର ଏକ ପକ୍ଷୀ ବିଶେଷ । ମୟୂର ପ୍ରଜାତିର ପୁରୁଷପକ୍ଷୀକୁ ମୟୂର ଓ ସ୍ତ୍ରୀ ପକ୍ଷୀକୁ ମୟୂରୀ କୁହାଯାଏ । ମୟୂରର ଲାଞ୍ଜ ଖୁବ ବଡ଼ ହୋଇଥିବାରୁ ତାହାକୁ ଲୋକୋକ୍ତିରେ ଲଞ୍ଜା ମୟୁର ଏବଂ ମୟୂରୀର ଲାଞ୍ଜ ଛୋଟ ହେଇଥିବାରୁ ତାହାକୁ ଲାଣ୍ଡୀ ମୟୂର ବୋଲି ମଧ୍ୟ କୁହାଯାଏ । ମୟୂରର ଲାଞ୍ଜର ବଡ଼ ପକ୍ଷ ଓ କଣ୍ଠର କ୍ଷୁଦ୍ର ପର ନାନା ବର୍ଣ୍ଣରେ ରଞ୍ଜିତ । ମୟୂରୀର ପରର ରଙ୍ଗ ମୟୁର ତୁଳନାରେ ଅପେକ୍ଷା କୃତ ମ୍ଲାନ ହେଲେହେଁ ମୟୂର ପରି ମୟୂରୀ ମଧ୍ୟ ସମମାତ୍ରାରେ ଆକର୍ଷଣୀୟ । ଏଣୁ ଏହି ପକ୍ଷୀ ପ୍ରଜାତି କାଳେ କାଳେ ବିଶ୍ୱର ବିହଙ୍ଗ ବିବିଧତା ମଧ୍ୟରେ ପ୍ରମୁଖତା ପାଇଆସିଛି। । ଏହା ସଂସ୍କୃତ ମି ଧାତୁରୁ ଉର୍ ପ୍ରତ୍ୟୟଦ୍ୱାରା ନିଷ୍ପନ୍ନ । ମିର ଅର୍ଥ କ୍ଷେପଣକରିବା ବୋଲି ଭାଷାକୋଷ ଲେଖିଥିଲେହେଁ ଏହାର ପ୍ରକୃତ ଅର୍ଥ ମାରିପକାଇବା । ମୟୂରର ଏକ ବିଶେଷତ୍ୱ ହେଉଛି, ପ୍ରାଣନାଶକାରୀ ବିଷଧର ସର୍ପକୁ ସେ ମାରିପକାଏ । ସେଥିପାଇଁ ହିଁ ମି ଧାତୁର ଉର୍ ପ୍ରତ୍ୟୟ ଯୋଗରେ ମୟୁର ଶବ୍ଦର ସୃଷ୍ଟି ହୋଇଛି । ଭାଷାକୋଷ ଅନୁସାରେ ମୟୂରର ଅନ୍ୟନାମ କେକୀ, ଶିଖି, ଶିଖଣ୍ଡୀ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭାରତୀୟ ଲୋଟଣୀ, ଭଦଭଦଳିଆ ଚଢ଼େଇ ଓଡ଼ିଶାର ଗର୍ବ ଓ ସଙ୍କେତ ଅଟେ । ଏହାକୁ ଓଡ଼ିଶାର ରାଜ୍ୟ ପକ୍ଷୀ (State Bird of Odisha) ଭାବେ ଘୋଷଣା କରାଯାଇଅଛି । ଏହି ପକ୍ଷୀ ମୁଖ୍ୟତଃ ଭାରତୀୟ ଉପମହାଦେଶରେ ଦେଖିବାକୁ ମିଳିଥାଏ । ଏହାଛଡା ଥାଇଲାଣ୍ଡ ଓ ଇରାକରେ ମଧ୍ୟ ଏମାନେ ଦେଖା ଯାଆନ୍ତି । ଭାରତର ଅନେକ ରାଜ୍ୟ ଏହି ପକ୍ଷୀକୁ ସେମାନଙ୍କର ରାଜ୍ୟ ପକ୍ଷୀ ଭାବେ ଘୋଷଣା କରିଛନ୍ତି ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
କର୍ମକ୍ଷେତ୍ରରେ ମହିଳାଙ୍କ ଯୌନ ଉତ୍ପୀଡନ (ନିଷେଧ, ନିବାରଣ ତଥା ପ୍ରତିକାର) ଅଧିନିୟମ, ୨୦୧୩
ମହିଳାମାନଙ୍କୁ ବିଶେଷ ଭାବେ କର୍ମଜୀବୀ ମହିଳାମାନଙ୍କୁ କର୍ମକ୍ଷେତ୍ରରେ ଯୌନ ଉତ୍ପୀଡନରୁ ରକ୍ଷାକରିବା ପାଇଁ ଭାରତ ସରକାରଙ୍କଦ୍ୱାରା ୨୦୧୩ ମସିହାରେ କର୍ମକ୍ଷେତ୍ରରେ ମହିଳାଙ୍କ ଯୌନ ଉତ୍ପୀଡନ (ନିଷେଧ, ନିବାରଣ ତଥା ପ୍ରତିକାର) ଅଧିନିୟମ, ୨୦୧୩ ଅଧିନିୟମିତ କରାଯାଇଛି ।
ମୁକ୍ତେଶ୍ୱର ଦେଉଳ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରଠାରେ ପର୍ଶୁରାମ ମନ୍ଦିରର ଅନତିଦୂରରେ ଅବସ୍ଥିତ । ଏହି ମନ୍ଦିରଟି ୯୫୦-୯୭୫ ମସିହା ମଧ୍ୟରେ ନିର୍ମାଣ କରାଯାଇଥିବା ଅନୁମାନ କରାଯାଏ । ଓଡ଼ିଶାରେ ହିନ୍ଦୁ ମନ୍ଦିର ଅନୁସନ୍ଧାନ ଏବଂ ଗବେଷଣାରେ ଏହାର ଭୂମିକା ଗୁରୁତ୍ୱପୂର୍ଣ୍ଣ ଅଟେ । ଏହି ମନ୍ଦିରର କାରୁକାର୍ଯ୍ୟ ପ୍ରାଚୀନ ବିକାଶର ନିଦର୍ଶନ ଦେଇଥାଏ, ଏଥିରୁ ଏକ ଶତ ବର୍ଷ ଧରି ବିଭିନ୍ନ ପରୀକ୍ଷାନିରୀକ୍ଷାର ପ୍ରାରମ୍ଭ ହୋଇଥିବା ଅନୁମାନ କରାଯାଏ; ଯାହା ଭୁବନେଶ୍ୱରରେସ୍ଥିତ ରାଜାରାଣୀ ମନ୍ଦିର ଏବଂ ଲିଙ୍ଗରାଜ ମନ୍ଦିରରେ ଦେଖିବାକୁ ମିଳେ । ଏହା ମଧ୍ୟ ସହରର ଏକ ପ୍ରମୁଖ ଦର୍ଶନୀୟ ସ୍ଥାନ ଅଟେ ।
ଏହା ଏକ କପୋତ ଶ୍ରେଣୀୟ ପକ୍ଷୀ । ଅପାଳିତ ଅବସ୍ଥାରେ ଏମାନେ ଘରର ଚାଳରେ ଦେଉଳର ଖୋଲରେ ଓ ପର୍ବତ ଖୋଲରେ ରହନ୍ତି । ଗୃହପାଳିତ ପାରାମାନେ ଧଳା, କଳା, ନାଲି ଆଦି ନାନା ରଙ୍ଗର ହୁଅନ୍ତି ଏମାନଙ୍କର ଶଦ୍ଦକୁ ଘୁମୁରିବା କହନ୍ତି ଏମାନଙ୍କର ଧ୍ୱନି 'ଚକ୍ ବକୂମ୍ କୀମ୍' । ଏମାନେ ଘମୁରିଲା ବେଳେ ବେକ ଫୁଲାନ୍ତି । ଏମାନେ ବହୁ ଉଚ୍ଚରେ ଉଡ଼ି ପାରନ୍ତି ଓ ଉଡ଼ିବା ସମୟରେ ଲୋଟଣି ପାରାମାନେ ବନ୍ଧ ଭାଙ୍ଗନ୍ତି । ଇଉରୋପ ଆଦି ଦେଶରେ ଏମାନଙ୍କ ଗୋଡ଼ରେ ଚିଠି ବାନ୍ଧି ଦେଇ ଉଡ଼ାଇ ଦେଲେ ଏମାନେ ଦୂର ଦେଶରେ ଅଭିପ୍ରେତ ସ୍ଥାନରେ ଯାଇ ପହଞ୍ଚିବାଦ୍ୱାରା ଦୂରବାସୀମାନେ ସମ୍ବାଦ ପାଆନ୍ତି । ପାରାମାନଙ୍କ ଉଡ଼ିବା ଦେଖିବା ପାଇଁ ଲୋକେ ସଉକିରେ ପାରା ପାଳନ୍ତି ଏମାନଙ୍କର ଦୃଷ୍ଟିଶକ୍ତି ଅତି ପ୍ରଖର ଏମାନେ ଉପରକୁ ୧/୨: ମାଇଲ ଉଚ୍ଚକୁ ଉଠି ମେଘରେ ଅଦୃଶ୍ୟ ହୋଇ ଯାଆନ୍ତି ଭୂଇଁରେ ସୋରିଷ ବୁଣି ଦେଲେ ଏମାନେ ବହୁ ଉଚ୍ଚରୁ ତାହା ଦେଖି ଖୁଣ୍ଟି ପାରନ୍ତି ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । କବି ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ସର୍ବାଧିକ ଓ ସର୍ବୋତ୍ତମ ଗବେଷଣା ଓ ସମାଲୋଚନା କରିଥିବା ଏକବିଂଶ ଶତାବ୍ଦୀର ବିଶିଷ୍ଟ ସମାଲୋଚକ, ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭୂମିକା ଦାଶ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ରୁମ୍କୁ ଝୁମାନା ଚଳଚ୍ଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ । ଏହା ପରେ ସେ ଗପ ହେଲେ ବି ସତ ଚଳଚ୍ଚିତ୍ରରେ ମଧ୍ୟ ଜନେ ଶିଶୁ କଳାକାର ଭାବରେ ଅଭିନୟ କରିଥିଲେ । ୨୦୧୭ ମସିହାରେ ଭୂମିକା ନବମ ଶ୍ରେଣୀରେ ପଢ଼ୁଥିବା ବେଳେ ତରଙ୍ଗ ସିନେ ପ୍ରଡକ୍ସନ୍ର ୭ମ ଚଳଚ୍ଚିତ୍ର ତୁ ମୋ ଲଭ୍ ଷ୍ଟୋରୀ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ନାୟିକା ଭାବରେ ଅଭିନୟ କରିଥିଲେ । ଭୂମିକା ଓଡ଼ିଶୀ ନୃତ୍ୟ ଶିକ୍ଷା କରିଛନ୍ତି ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ପୁରୀରେ ଲୋକନାଥ ମନ୍ଦିର ଅବସ୍ଥିତ । ଲୋକନାଥଙ୍କ ବିଜେ ପ୍ରତିମା 'ଭଣ୍ଡାର ଲୋକନାଥ' ଶ୍ରୀଜଗନ୍ନାଥଙ୍କ ଭଣ୍ଡାର ରକ୍ଷକ ଭାବେ ପରିଚିତ । ଏଠାରେ ବର୍ଷସାରା ଲୋକନାଥଙ୍କ ଶ୍ରୀଲିଙ୍ଗ ପାଣି ଭିତରେ ବୁଡ଼ି ରହିଥାନ୍ତି । ଜଳବିହାରୀ ଶ୍ରୀଲୋକନାଥଙ୍କ ଲିଙ୍ଗରୁ ବର୍ଷସାରା ଜଳ ନିର୍ଗମ ହୋଇ ମନ୍ଦିର ଗମ୍ଭିରାକୁ ପରିପୂର୍ଣ୍ଣ କରିଦେଇଥାଏ । ଶ୍ରୀକ୍ଷେତ୍ରେ ବିଜେ ବାବା ଶ୍ରୀଲୋକନାଥଙ୍କ ଶକ୍ତି ବିଜେ କରିଥିବା ଗର୍ଭଗୃହରୁ ପଙ୍କୋଦ୍ଧାର ଏକାଦଶୀରେ ପଙ୍କୋଦ୍ଧାର ହୋଇଥାଏ । ବର୍ଷସାରା ପ୍ରଭୁଙ୍କ ଲିଙ୍ଗ ଉପରେ ଲାଗି କରାଯାଇଥିବା ଫୁଲ, ବେଲପତ୍ର, ଛାଚି, କଦଳୀ ଓ ଜମି ଯାଇଥିବା ପଙ୍କ ଏହି ଅବସରରେ ବାହାର କରାଯାଇଥାଏ । ସେବାୟତମାନେ ଗମ୍ଭିରାରୁ ପଙ୍କ ଓ ପୂଜା ସାମଗ୍ରୀକୁ ଉଦ୍ଧାର କରିବା ପରେ ଭକ୍ତମାନେ ଠାକୁରଙ୍କୁ ଦର୍ଶନ କରିଥାନ୍ତି । ବର୍ଷକରେ ଦିନେ ଶ୍ରଦ୍ଧାଳୁମାନେ ଶ୍ରୀଲିଙ୍ଗ ଦର୍ଶନ କରିବାର ସୁଯୋଗ ପାଇଥାନ୍ତି ।
ରକ୍ତ ହେଉଛି ଏକ ପ୍ରକାର ସଂଯୋଜକ ତନ୍ତୁ । ଏହାର ଅନ୍ତର୍ଗତ ଜୀବକୋଷଗୁଡ଼ିକୁ ରକ୍ତ କୋଷ ବା ରକ୍ତକଣିକା (Blood Corpuscles) କୁହାଯାଏ। ଏହି କଣିକାଗୁଡ଼ିକ ରକ୍ତରେ ଏକ ତରଳ ପଦାର୍ଥରେ ଭାସୁଥାନ୍ତି, ସେହି ତରଳ ପଦାର୍ଥକୁ ପ୍ରଲସି (plasma) କୁହାଯାଏ । ତେଣୁ ସାଧାରଣ ଭାବରେ ବୁଝିବାକୁ ଗଲେ ରକ୍ତ ହେଉଛି ମୁଖ୍ୟତଃ ପ୍ରଲସି ଓ ରକ୍ତ କଣିକାର ସମଷ୍ଟି । ରକ୍ତ ଏକ ଅଠାଳିଆ ତରଳ ପଦାର୍ଥ ଯାହାର ସ୍ୱାଦ ଲୁଣିଆ ଓ ଗନ୍ଧ ଆଇଁଷିଣିଆ । ଏହାର ରଙ୍ଗ ଲାଲ ହୋଇଥିଲେ ମଧ୍ୟ କେତେକ ପରିସ୍ଥିତିରେ ଏହାର ରଙ୍ଗରେ ପାର୍ଥକ୍ୟ ଦେଖାଯାଇଥାଏ । ଅଣୁବୀକ୍ଷଣ ସାହାଯ୍ୟରେ ରକ୍ତକୁ ପରୀକ୍ଷା କଲେ ସେଥିରେ ଥିବା କଣିକାଗୁଡ଼ିକ ଦେଖାଯାନ୍ତି।
ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।
ପୁରୀ ବେଳାଭୂମି ଓଡ଼ିଶାର ପୁରୀଠାରେ ଥିବା ବଙ୍ଗୋପ ସାଗର ତଟବର୍ତ୍ତୀ ଗୋଟିଏ ବିସ୍ତୃତ ବେଳାଭୂମି । ଏହା ଓଡ଼ିଶା ସରକାରଙ୍କ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗଦ୍ୱାରା ଚିହ୍ନିତ ଏକ ପର୍ଯ୍ୟଟନ ସ୍ଥଳୀ । ଏହାର ମରାମତି ଓ ପରିଚାଳନା ଭାର ପୁରୀ ନଗରପାଳିକା (ପିଏମସି) ଏବଂ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଉପରେ ନ୍ୟସ୍ତ । ଜଗନ୍ନାଥଙ୍କ ଦର୍ଶନ ନିମନ୍ତେ ଆସୁଥିବା ତୀର୍ଥଯାତ୍ରୀମାନେ ଏଠାରେ ସ୍ନାନ ନିମନ୍ତେ ଆସିଥାନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ରାମାୟଣ, ଭିନ୍ନ ଭାଷା ଓ ପ୍ରକାରଭେଦ ରେ
ହିନ୍ଦୁ ଧାର୍ମିକ ମହାକାବ୍ୟ ରାମାୟଣର ବିଭିନ୍ନ ଭାଷାରେ ଅନ୍ୟୁନ ତିନି ଶହ ବିଭିନ୍ନ ରଚନା ରହିଥିବାର ଜଣାଯାଏ । ସେହି ମଧ୍ୟରୁ ସର୍ବପୁରାତନ ରାମାୟଣ ସନ୍ଥ ବାଲ୍ମୀକିଙ୍କ ରଚିତ ରାମାୟଣ ଓ ଅନେକ ରାମାୟଣ ସେହି ରାମାୟଣକୁ ଆଧାର କରି ଲେଖାଯାଇଛି । ମୂଳ କଥା ବସ୍ତୁ ସବୁ ରାମାୟଣରେ ସମାନ ରହିଥିଲେ ମଧ୍ୟ ବିଭିନ୍ନ ବିଷୟ ବସ୍ତୁରେ ବିବିଧତା ରହିଥାଏ ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ଦାଶ ଏକ ଓଡ଼ିଆ ବ୍ରାହ୍ମଣ (ଉତ୍କଳ ବ୍ରାହ୍ମଣ) ଉପନାମ ଅଟେ। ଏହି ମାନଙ୍କର ଅବସ୍ଥିତି ଓଡ଼ିଶା ସାରା ଦେଖିବାକୁ ମିଳିଥାଏ। ଦାଶ ଏକ ଏଭଳି ସ୍ୱତନ୍ତ୍ର ଓଡ଼ିଆ ଉପନାମ ଯାହାକି ଖାଲି ଓଡ଼ିଶାରେ ହିଁ ଦେଖିବକୁ ମିଳିଥାଏ ଓ ଏହା ଉତ୍କଳ ବ୍ରାହ୍ମଣ ବଂଶକୁ ସୁଚାଇ ଥାଏ। ଏହି ଉପନାମ ଧାରୀ ବୈଦିକଧର୍ମ ଅନ୍ତର୍ଗତ ଶ୍ରୌତ ପରମ୍ପରାର ପାଳନ କରନ୍ତି। କୌଶିକୠଷିଙ୍କ ବଂଶଧର ହୋଇଥିବା ହେତୁ ଏହିମାନଙ୍କର ଗୋତ୍ର କୌଶିକ ଅଟେ।ତଥାପି ଏହି ବର୍ଗ ମଧ୍ୟରେ ବତ୍ସସ୍ୟ,ଭାରଦ୍ୱାଜ,କୌଣ୍ଡିନ୍ୟ,ହାରିତସ୍ୟ ଆଦି ଗୋତ୍ର ଦେଖିବାକୁ ମିଳିଥାଏ। ଦାଶ ଉପନାମଟି ଦୁଇଟି ଶବ୍ଦ ସମ୍ମିଶ୍ରଣ ଅଟେ, ତାହା ହେଉଛି ଦାନ ଓ ଇଶ (ଦାନ+ଇଶ=ଦାଶ)।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ୨୮ଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କୁମ୍ଭ ମେଳା, ହିନ୍ଦୁ ଧର୍ମର ପରମ୍ପରା ଓ ସଂସ୍କୃତିରେ ଏକ ମହାମେଳା ବା ମହାପର୍ବ । ଏହା ଭାରତ ଉପଖଣ୍ଡର ତ୍ରିବେଣୀ ସଙ୍ଗମଠାରେ ଆୟୋଜିତ ହୁଏ । ୧୨ ବର୍ଷରେ ଥରେ ହୁଏ କୁମ୍ଭ ମେଳା ଓ ପ୍ରତିତିନି ବର୍ଷରେ ଅଲଗା ଅଲଗା ସ୍ଥାନ ହରିଦ୍ୱାର, ପ୍ରୟାଗ, ଉଜ୍ଜୟିନୀ ଓ ନାଶିକରେ ଅନୁଷ୍ଠିତ ହୁଏ । ଗଙ୍ଗା-ଯମୁନା-ସରସ୍ୱତୀର ସଙ୍ଗମସ୍ଥଳରେ ମହାକୁମ୍ଭମେଳା ସମୟରେ ଲକ୍ଷ ଲକ୍ଷ ସାଧୁସନ୍ଥ ତଥା ହିନ୍ଦୁ ଶ୍ରଦ୍ଧାଳୁ ସ୍ନାନ କରି ପୂଣ୍ୟ ଅର୍ଜନ କରନ୍ତି ।