ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମହାତ୍ମା ଗାନ୍ଧୀଙ୍କୁ ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ବିରଳା ଭବନଠାରେ (ବର୍ତ୍ତମାନର ନୂଆଦିଲ୍ଲୀର ଗାନ୍ଧୀ ସ୍ମୃତି) ଗୁପ୍ତ ଭାବରେ ହତ୍ୟା କରାଯାଇଥିଲା । ସେଠାରେ ଗାନ୍ଧୀ ତାଙ୍କ ପରିବାର ଓ ଅନୁଗାମୀମାନଙ୍କ ସହ ପ୍ରାର୍ଥନା ସଭାରେ ଥିବାବେଳେ ହିନ୍ଦୁ ମହାସଭାର ରାଷ୍ଟ୍ରବାଦୀ ନାଥୁରାମ ବିନାୟକ ଗଡସେ ତାଙ୍କ ଛାତିକୁ ଅତି ନିକଟରୁ ୩ଥର ଗୁଳି ଚଳାଇଥିଲେ । ପରେ ତାଙ୍କୁ ସଙ୍ଗେ ସଙ୍ଗେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ରହଣିସ୍ଥଳ ବିରଳା ଭବନକୁ ନିଆଯାଇଥିଲା ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅସୀମ ବସୁ (୩୦ ନଭେମ୍ବର ୧୯୩୫ - ୧ ଫେବୃଆରୀ ୨୦୧୭) ଜଣେ ଓଡ଼ିଆ ଚିତ୍ରକର, ଅଭିନେତା, ନିର୍ଦ୍ଦେଶକ, ସାହିତ୍ୟିକ ଏବଂ କଳା ନିର୍ଦ୍ଦେଶକ ଥିଲେ । ୫୦ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ଅସୀମ ଓଡ଼ିଶାର କଳା ସାହିତ୍ୟ କ୍ଷେତ୍ରରେ ସକ୍ରିୟଥିଲେ । ସେ ୨୦୦୦ରୁ ଅଧିକ ନାଟକରେ ମଞ୍ଚ ସଜେଇଥିଲେ ଓ ୫୦ରୁ ଅଧିକ ନାଟକରେ ଅଭିନୟ ବା ନିର୍ଦ୍ଦେଶନା କରିଥିଲେ । ସେ ବହୁବାର ଦିଲ୍ଲୀ ଗଣତନ୍ତ୍ର ଦିବସ ପ୍ୟାରେଡ଼ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ତିଆରି କରିଥିଲେ ।ଚିତ୍ରକଳାକୁ ନିଜ ପେଶା ଓ ମଞ୍ଚକୁ ନିଜ ନିଶା ବୋଲି କହୁଥିବା ଅସୀମ ଓଡ଼ିଶା ନାଟ୍ୟସଂଘର ସଭାପତି ପଦବୀ ମଧ୍ୟ ଅଳଙ୍କୃତ କରିଥିଲେ । ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର ଚୟନ କମିଟିରେ ରହି ରାଜ୍ୟର ଅନେକ ପ୍ରତିଭାକୁ ଚୟନ କରିଥିଲେ । ନାଟ୍ୟ ରଚନା ଓ ମଞ୍ଚସଜାରେ ସେ ସିଦ୍ଧହସ୍ତ ଥିଲେ । ଓଡ଼ିଶାର କଳା, ସାହିତ୍ୟ ଓ ସଂସ୍କୃତି ପ୍ରତି ତାଙ୍କର ଉଲ୍ଲେଖନୀୟ ଅବଦାନ ଥିଲା ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କଳାପାହାଡ଼ ନାମରେ ବଙ୍ଗଳାର ମୋଗଲ ଶାସକ ସୁଲତାନ ସୁଲେମାନ କିର୍ରାନିଙ୍କର (Sulaiman Karrani) ଜଣେ ସେନାପତିଙ୍କୁ ଡକାଯାଉଥିଲା । କେତେକ ଐତିହାସିକ ତଥ୍ୟରୁ ଜଣାଯାଏ, ସେ କଳିଙ୍ଗ-ଉତ୍କଳର ଶେଷ ସମ୍ରାଟ ମୁକୁନ୍ଦଦେବଙ୍କର ହିନ୍ଦୁ (ଓଡ଼ିଆ)ସେନାପତି ଥିଲେ, ଜାତିରେ କାୟସ୍ଥ ଥିଲେ ଓ ତାଙ୍କର ନାମ ରାଜିବ ଲୋଚନ ରାୟ ଥିଲା । ଧର୍ମ ପରିବର୍ତ୍ତନ କରି ସେ ମୁସଲମାନ ହେଲେ। ସେଖ୍ କବିର ବାତିନିଙ୍କର ମତରେ କଳାପାହାଡ଼ ଆଫଗାନ ଲୋକ ଥିଲେ । ଲୋକମୁଖରେ ସେ କଳାପାହାଡ଼ ନାମରେ ପରିଚିତ ଥିଲେ । ଓଡ଼ିଶାର କେତେକ ସ୍ଥାନ ସେ ବଙ୍ଗଳାର ଆଫଗାନ ଶାସକଙ୍କ ନିମନ୍ତେ ଦଖଲ କରିଥିଲେ ।କଳା ପାହାଡ ବହୁତ ନିଷ୍ଠୁର ଥିଲେ ସେ ଆକବରଙ୍କ ବାପାଙ୍କ ମାଉସୀ ପୁଅର ପୁଅ ଥିଲେ
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଲାଞ୍ଜିଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଲାଞ୍ଜିଗଡ଼ (କ୍ରମିକ ସଂଖ୍ୟା: ୭୭) କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଗୌରହରି ଦାସ (ଜନ୍ମ: ୯ ଅକ୍ଟୋବର ୧୯୬୦) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ସ୍ତମ୍ଭକାର । ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି । ସଂପ୍ରତି ସେ ଓଡ଼ିଆ ଖବରକାଗଜ ସମ୍ବାଦର ସାହିତ୍ୟ ସମ୍ପାଦକ ଏବଂ କଥା ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରନ୍ତି । ସେ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଆ ଆଣ୍ଡ କଲ୍ଚର" ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ । ପୂର୍ବରୁ ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଥିଲେ । ତାଙ୍କର ସାହିତ୍ୟ ରଚନା ନିମନ୍ତେ ଅନ୍ୟାନ୍ୟ ପୁରସ୍କାର ଓ ସମ୍ମାନ ସମେତ ସେ ସେ ୨୦୧୨ ମସିହାରେ "କଣ୍ଟା ଓ ଅନ୍ୟାନ ଗଳ୍ପ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଏବଂ ୨୦୦୧ରେ "ନିଜ ସାଙ୍ଗେ ନିଜର ଲଢ଼େଇ" ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ତାଙ୍କର "ବାଘ ଓ ଅନ୍ୟାନ୍ୟ ଗଳ୍ପ" ଗଳ୍ପସଂକଳନ ନିମନ୍ତ ସେ ୨୦୨୨ ମସିହାରେ ଶାରଳା ପୁରସ୍କାର ପାଇଁ ମନୋନୀତ ହୋଇଥିଲେ ।
ଏସୀୟ ଖାଦ୍ୟ କହିଲେ ଏସିଆ ମହାଦେଶରେ ପ୍ରଚଳିତ ଖାଦ୍ୟ ଓ ରାନ୍ଧଣାକୁ ବୁଝାଏ । ଭିନ୍ନ ଭିନ୍ନ ଅଞ୍ଚଳରେ ରାନ୍ଧଣା ପ୍ରଣାଳୀ ମଧ୍ୟ ଭିନ୍ନ ଭନ୍ନ ହୋଇଥିବାରୁ ଭୌଗଳିକ ବିଭାଜନ ଅନୁଯାୟୀ ଏହି ଖାଦ୍ୟଗୁଡ଼ିକୁ ପୂର୍ବ ଏସୀୟ ଖାଦ୍ୟ, ଦକ୍ଷିଣ-ପୂର୍ବ ଏସୀୟ ଖାଦ୍ୟ, ଦକ୍ଷିଣ ଏସୀୟ ଖାଦ୍ୟ, ମଧ୍ୟ ଏସୀୟ ଖାଦ୍ୟ ଓ ମଧ୍ୟ-ପୂର୍ବ ଏସୀୟ ଖାଦ୍ୟ ଇତ୍ୟାଦି ଭାଗରେ ବିଭକ୍ତ କରାଯାଇଛି । ଏସିଆ ପୃଥିବୀର ବୃହତ୍ତମ ଓ ସର୍ବାଧିକ ଜନବହୁଳ ମହାଦେଶ ହୋଇଥିବାରୁ ଏଠାରେ ବିଭିନ୍ନ ପ୍ରକାର ପାରମ୍ପରିକ ଖାଦ୍ୟ ମିଳିଥାଏ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା ନାମରେ ପାଳନ କରାଯାଏ । ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଭଗବାନ ଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଶ୍ରୀଜୀଉଙ୍କର ଏହିଦିନ ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କଦ୍ୱାରା ଏକ ବଡ଼ ସପ୍ତପୁରୀ (ସାତପୁରୀ) ପ୍ରସ୍ତୁତ କରାଯାଇ ଠାକୁରଙ୍କଠାରେ ଭୋଗଲାଗି ହୋଇଥାଏ । ଏହାକୁ ସପ୍ତପୁରୀ ତାଡ଼ ମଧ୍ୟ କୁହାଯାଇଥାଏ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ମନମୋହନ ସାମଲ (ଜନ୍ମ: ୧୫ ଅପ୍ରେଲ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହି ବିଧାନ ସଭାରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗଣନାଥ ପ୍ରଧାନ (୭ ଡିସେମ୍ବର ୧୯୨୪ - ୧୪ ଅକ୍ଟୋବର ୨୦୦୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର ଏବଂ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ଓ ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୭୭ ଭାରତୀୟ ସାଧାରଣ ନିର୍ବାଚନରେ ସେ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ନିମାଇଁ ଚରଣ ହରିଚନ୍ଦନ (୧୯୦୧-୧୯୮୩) ଜଣେ ଭାରତୀୟ କଣ୍ଠଶୀଳ୍ପି ଥିଲେ । ସେ ଓଡ଼ିଶାର ପ୍ରଥମ ପେଶାଦାର କଣ୍ଠଶିଳ୍ପୀ ଥିଲେ ଏବଂ ମୁଖ୍ୟତଃ ଓଡ଼ିଶୀ ସଙ୍ଗୀତର ଓଡ଼ିଶୀ ବା ଚଉପଦୀ, ଛାନ୍ଦ, ଚମ୍ପୂ, ଚଉତିଶା, ଜଣାଣ, ଭଜନ, ପୋଈ ଆଦି ବିଭିନ୍ନ ବିଭାବ, ରାମଲୀଳା (ବିଶି ଖୁଣ୍ଟିଆ, ସଦାଶିବ ବୈଶ୍ୟ, କେଶବ ପଟ୍ଟନାୟକ ଆଦି ବିବିଧ କବିଙ୍କ ରାମଲୀଳା) ଭଳି ପାରମ୍ପରିକ ସଙ୍ଗୀତ ତଥା କୃଷ୍ଣଲୀଳା ଏବଂ ପଲ୍ଲୀଗୀତ ଆଦି ଗାନରେ ପ୍ରବୀଣ ଥିଲେ । ତାଙ୍କ କଣ୍ଠରେ ବୈଦେହୀଶ ବିଳାସ, ବିଦଗ୍ଧ ଚିନ୍ତାମଣି, ବିଚିତ୍ର ରାମାୟଣ, ମଥୁରାମଙ୍ଗଳ, ଗୋପୀଭାଷା, କିଶୋରଚନ୍ଦ୍ରାନନ୍ଦ ଚମ୍ପୂ ଆଦି ପ୍ରାଚୀନ କାବ୍ୟକୃତିରୁ ଗୀତମାନ ରେକର୍ଡ଼ ହୋଇଛି । ଏହା ଛଡ଼ା ସେ ଅନେକ ନୀତିଶିକ୍ଷା ଓ ସରକାରୀ ଉଦ୍ଦେଶ୍ୟରେ ଜନ ସଚେତନତା ଗୀତ ମଧ୍ୟ ଗାଇଛନ୍ତି ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଶ୍ରୀଗୁଣ୍ଡିଚା ପରେ ମାଉସୀ ମନ୍ଦିରରୁ ତିନି ଦିଅଁଁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ବାହୁଡ଼ା ଯାତ୍ରା ସାରି ଜଗତି ଉପରେ ବିଜେ କରିବା ନୀଳାଦ୍ରୀ ବିଜେ ନାମରେ ଜଣା । ଗୁଣ୍ଡିଚା ଦିନ ତିନିଠାକୁର ରଥରେ ଗୁଣ୍ଡିଚା ମନ୍ଦିର ଯାଏ ଯାଇ ବାହୁଡ଼ା ଯାତ୍ରାରେ ବଡ଼ଦେଉଳକୁ ଲେଉଟନ୍ତି । ଲେଉଟିବା ପରେ ରଥରୁ ଠାକୁରମାନେ ରତ୍ନବେଦୀକୁ ବିଜେ କରନ୍ତି । ଏହା ନବଦିନ ବ୍ୟାପୀ ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟ ।
ଆଷାଢ଼ ମାସ ଶୁକ୍ଳପକ୍ଷ ଏକାଦଶୀର ନାମ ‘ହରି ଶୟନୀ’ ବା ପଦ୍ମା ଏକାଦଶୀ । ଆଷାଢ଼ ମାସ ଶୁକ୍ଳପକ୍ଷରେ ‘ହରି ଶୟନୀ ଏକାଦଶୀ’ ଦିନ ଯିଏ କମଳ ପୁଷ୍ପରେ କମଳଲୋଚନ ଭଗବାନ ବିଷ୍ଣୁଙ୍କ ପୂଜା ତଥା ଉତ୍ତମ ଏକାଦଶୀ ବ୍ରତ କରେ, ତା’ଦ୍ୱାରା ତିନିଲୋକ ଓ ତିନି ସନାତନ ଦେବତାଙ୍କ ପୂଜନ ହୋଇଥାଏ । ‘ହରିଶୟନୀ ଏକାଦଶୀ’ ଦିନ ଭଗବାନଙ୍କ ଗୋଟିଏ ସ୍ୱରୂପ ରାଜା ବଳିଙ୍କ ପାଖରେ ରହେ ଓ ଅନ୍ୟଟି କ୍ଷୀର ସାଗରରେ ଶେଷନାଗ ଶଯ୍ୟାରେ ଆଗାମୀ କାର୍ତ୍ତିକ ଏକାଦଶୀ ଆସିବା ପର୍ଯ୍ୟନ୍ତ ଶୟନ କରେ । ଏଣୁ ଆଷାଢ଼ ମାସ ଶୁକ୍ଳପକ୍ଷ ଏକାଦଶୀଠାରୁ କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ପର୍ଯ୍ୟନ୍ତ ମନୁଷ୍ୟ ଉତ୍ତମ ରୂପେ ଧର୍ମ ଆଚରଣ କରିବା ଉଚିତ । ଯେଉଁ ମନୁଷ୍ୟ ଏହି ବ୍ରତର ଅନୁଷ୍ଠାନ କରେ, ସେ ପରମଗତି ପ୍ରାପ୍ତ ହୁଏ । ଏଣୁ ଯତ୍ନପୂର୍ବକ ଏହି ଏକାଦଶୀ ବ୍ରତ କରିବା ଉଚିତ୍ । ଏକାଦଶୀ ରାତିରେ ଜାଗରଣ କରି ଶଙ୍ଖ, ଚକ୍ର ଓ ଗଦାଧାରୀ ଭଗବାନ ବିଷ୍ଣୁଙ୍କ ଭକ୍ତିପୂର୍ବକ ପୂଜା କରିବା ଉଚିତ । ଏହି ବ୍ରତ କରୁଥିବା ମନୁଷ୍ୟର ପୁଣ୍ୟର ଗଣନା କରିବାକୁ ସ୍ୱୟଂ ଚତୁର୍ମୁଖ ବ୍ରହ୍ମା ମଧ୍ୟ ଅସମର୍ଥ । ଯିଏ ଏହି ପ୍ରକାର ଭୋଗ ଓ ମୋକ୍ଷ ପ୍ରଦାନକାରୀ ସର୍ବପାପହାରୀ ଉତ୍ତମ ଏକାଦଶୀ ବ୍ରତ ପାଳନ କରେ, ସେ ଜାତିରେ ଚଣ୍ଡାଳ ହୋଇଥିଲେ ମଧ୍ୟ ସଂସାରରେ ସର୍ବଦା ବିଷ୍ଣୁଙ୍କର ଅତି ପ୍ରିୟ ହୋଇ ରହେ । ଯେଉଁ ମନୁଷ୍ୟ ଦୀପଦାନ, ପଳାଶ ପତ୍ରରେ ଭୋଜନ ଏବଂ ବ୍ରତ କରି ଚତୁର୍ମାସ ଅତିବାହିତ କରେ ସେ ମଧ୍ୟ ବିଷ୍ଣୁଙ୍କର ଅତି ପ୍ରିୟ । ଚତୁର୍ମାସରେ ଭଗବାନ ବିଷ୍ଣୁ ଶୋଇ ରହନ୍ତି, ଏଥିପାଇଁ ମନୁଷ୍ୟ ଭୂମିରେ ଶୟନ କରିବା ଉଚିତ । ଶ୍ରାବଣ ମାସରେ ଶାଗ, ଭାଦ୍ରବ ମାସରେ ଦହି, ଆଶ୍ୱିନ ମାସରେ ଦୁଧ ଏବଂ କାର୍ତ୍ତିକ ମାସରେ ଡାଲି ତ୍ୟାଗ କରିଦେବା ଉଚିତ । ଯିଏ ଚତୁର୍ମାସରେ ବ୍ରହ୍ମଚର୍ଯ୍ୟ ପାଳନ କରେ, ସେ ପରମଗତି ପ୍ରାପ୍ତ ହୁଏ । ଏକାଦଶୀ ବ୍ରତଦ୍ୱାରା ହିଁ ମନୁଷ୍ୟ ସବୁ ପାପରୁ ମୁକ୍ତ ହୋଇଯାଏ । ଏଣୁ ସର୍ବଦା ଏହି ବ୍ରତ କରିବା ଉଚିତ । ଏହା କଦାପି ଭୁଲିବା ଉଚିତ୍ ନୁହେଁ । ‘ଶୟନୀ’ ଓ ‘ବୋଧିନୀ’ ଏକାଦଶୀ ମଧ୍ୟରେ ଯେଉଁ କୃଷ୍ଣପକ୍ଷୀୟ ଏକାଦଶୀମାନ ପଡ଼େ, ଗୃହସ୍ଥ ପାଇଁ କେବଳ ତାହା ହିଁ ବ୍ରତ ରଖିବା ଯୋଗ୍ୟ । ଅନ୍ୟ ମାସର କୃଷ୍ଣପକ୍ଷୀୟ ଏକାଦଶୀ ଗୃହସ୍ଥ ପାଇଁ ବ୍ରତ ରଖିବା ଯୋଗ୍ୟ ନୁହେଁ । ଶୁକ୍ଳପକ୍ଷର ସମସ୍ତ ଏକାଦଶୀ କରିବା ଉଚିତ୍ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
କାରା କାର୍ଲିଟନ୍ ଫିଓରିନା ବା କାର୍ଲି ଫିଓରିନା ଜଣେ ଆମେରିକୀୟ ମହିଳା ଉଦ୍ୟୋଗପତି । ସେ ୧୯୫୪ ମସିହା ସେପ୍ଟେମ୍ବର ମାସ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ସେ ହେୱେଲେଟ୍-ପାକାର୍ଡ଼୍ (Hewlett-Packard ବା HP) କମ୍ପାନୀର ପୂର୍ବତନ ଚିଫ୍ ଏକ୍ଜିକ୍ୟୁଟିଭ୍ ଅଫିସର୍ (CEO) ଭାବେ ଜଣାଶୁଣା । କାର୍ଲି ଫିଓରିନା ୧୯୯୯ ମସିହାରୁ ୨୦୦୫ ମସିହା ପର୍ଯ୍ୟନ୍ତ ଏଚ୍.ପି. କମ୍ପାନୀର ସି.ଇ.ଓ. ଥିଲେ । ଏଚ୍.ପି.
ଅମିତାଭ ବଚ୍ଚନ (ହିନ୍ଦୀ: अमिताभ बच्चन, ଉଚ୍ଚାରଣ [əmɪtaːbʱ bəttʃən]) ଜଣେ ଭାରତୀୟ ହିନ୍ଦୀ କଥାଚିତ୍ର ଅଭିନେତା ଓ ପ୍ରଯୋଜକ । ତାଙ୍କର ପୂରାନାମ ଅମିତାଭ ହରିବଂଶ ରାୟ ଶ୍ରୀବାସ୍ତବ ବଚ୍ଚନ । ସେ ୧୯୪୨ ମସିହା ଅକ୍ଟୋବର ମାସ ୧୧ ତାରିଖରେ ଭାରତର ଉତ୍ତର ପ୍ରଦେଶଠାରେ ଜନ୍ମଗ୍ରହଣ କରିଥିଲେ । ୧୯୬୯ ମସିହା ନଭେମ୍ବର ମାସ ୭ ତାରିଖରେ ମୁକ୍ତିଲାଭ କରିଥିବା ସାତ୍ ହିନ୍ଦୁସ୍ତାନୀ ହେଉଛି ତାଙ୍କ ଅଭିନୀତ ପ୍ରଥମ ଚଳଚ୍ଚିତ୍ର । ୧୯୭୦ ଦଶକର ପ୍ରଥମାର୍ଦ୍ଧରେ ଜଞ୍ଜିର୍ ଓ ଦିୱାର୍ ଭଳି ଚଳଚ୍ଚିତ୍ରରେ ତାଙ୍କର ଅଭିନୟ ତାଙ୍କୁ ଲୋକପ୍ରିୟ କରାଇଥିଲା । ବଲିଉଡ୍ରେ ସେ ଅଭିନୟ କରିଥିବା ଚରିତ୍ରଗୁଡ଼ିକ ପାଇଁ ତାଙ୍କୁ ଭାରତର ପ୍ରଥମ ୟାଙ୍ଗ୍ରି ୟଙ୍ଗ୍ ମ୍ୟାନ୍ ଆଖ୍ୟା ମଧ୍ୟ ଦିଆଯାଇଛି । ହିନ୍ଦୀ ସିନେ ଜଗତରେ ସେ ବଲିଉଡ୍ର ଶେହେନ୍ଶାହ, ସୁପର୍ଷ୍ଟାର୍ ଅଫ୍ ଦ ମିଲେନିୟମ୍ ଓ ବିଗ୍ ବି ନାମରେ ବେଶ୍ ଜଣାଶୁଣା । ସେ ୪ ଦଶନ୍ଧୀରୁ ଅଧିକ ସମୟ ଧରି ପ୍ରାୟ ୧୮୦ଟି ଭାରତୀୟ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି । ସେ କଭି କଭି ମେରେ ଦିଲ୍ ମେ (ଚଳଚ୍ଚିତ୍ର : କଭି କଭି), ଏକ୍ଲା ଚଲୋ ରେ (ଚଳଚ୍ଚିତ୍ର : କାହାନୀ), ବାତେଁ ହୱା ହେ ସାରି (ଚଳଚ୍ଚିତ୍ର : ଚିନି କମ୍), ନୂର୍ (ଚଳଚ୍ଚିତ୍ର : ଦିଲ୍ଲୀ ୬), ଚଲି ଚଲି (ଚଳଚ୍ଚିତ୍ର : ବାଗ୍ବାନ୍) ଓ ହୋରି ଖେଲେ (ଚଳଚ୍ଚିତ୍ର : ବାଗ୍ବାନ୍) ଭଳି ଅନେକ ଗୀତରେ ସେ କଣ୍ଠଦାନ ମଧ୍ୟ କରିଛନ୍ତି । ଭାରତୀୟ ସିନେ ଇତିହାସରେ ବଚ୍ଚନଙ୍କୁ ଜଣେ ମହାନ ଓ ପ୍ରଭାବଶାଳୀ ଅଭିନେତା ଭାବେ ଜଣାଯାଏ । ୧୯୭୦-୮୦ ଦଶକରେ ତାଙ୍କର ପ୍ରଭାବଶାଳୀ ଅଭିନୟ ପାଇଁ ଫ୍ରେଞ୍ଚ୍ ନିର୍ଦ୍ଦେଶକ ଫ୍ରାନ୍କୋଇସ୍ ଟ୍ରୁଫାଉଟ୍ ତାଙ୍କୁ ୱାନ୍-ମ୍ୟାନ୍-ଇଣ୍ଡଷ୍ଟ୍ରି ଆଖ୍ୟା ଦେଇଥିଲେ । ୧୯୮୦ ମସିହାରେ ବଚ୍ଚନଙ୍କୁ ଲୋକ ସଭାର ଜଣେ ସଦସ୍ୟ ରୂପେ ମନୋନୀତ କରାଯାଇଥିଲା । ୧୯୯୦ ମସିହାରେ ସେ ତାଙ୍କର ନିଜର ଚଳଚ୍ଚିତ୍ର ପ୍ରଯୋଜନାକାରୀ କମ୍ପାନୀ ଆରମ୍ଭ କରିଥିଲେ । ୧୯୯୭ ମସିହାରେ ପୁନର୍ବାର ମୃତ୍ୟୁଦାତା ଚଳଚ୍ଚିତ୍ର ଜରିଆରେ ସେ ଅଭିନୟ ଦୁନିଆକୁ ଫେରିଥିଲେ । ୨୦୦୦ ମସିହାରେ ସେ Who Wants to Be a Millionaire?ର ଭାରତୀୟ ସଂସ୍କରଣ କୌନ୍ ବନେଗା କରୋଡ଼୍ପତି?ର ସଞ୍ଚାଳକ ଭାବେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ୨୦୧୩ ମସିହାରେ ଦ ଗ୍ରେଟ୍ ଗ୍ୟାଟ୍ସ୍ବାୟ୍ ଚଳଚ୍ଚିତ୍ରରେ ମେୟର୍ ୱଲ୍ଫ୍ଶିମ୍ ନାମକ ଏକ ଅଣଭାରତୀୟ ଚରିତ୍ରରେ ଅଭିନୟ କରି ସେ ପ୍ରଥମ ଥର ପାଇଁ ହଲିଉଡ୍ରେ ନିଜ ପାଦ ଥାପିଥିଲେ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ
ପାରମ୍ପରିକ ଭୌତିକ ବିଜ୍ଞାନ ଅନୁସାରେ ପ୍ରତ୍ୟେକ ପରମାଣୁ ଇଲେକ୍ଟ୍ରନ୍, ନିଉଟ୍ରନ୍ ଓ ପ୍ରୋଟୋନ୍ ଆଦିଙ୍କଦ୍ୱାରା ଗଠିତ ବୋଲି କୁହାଯାଇଛି । ଅନେକ ଦିନ ପର୍ଯ୍ୟନ୍ତ ଇଲେକ୍ଟ୍ରନ୍, ପ୍ରୋଟୋନ୍ ଆଦି ପଦାର୍ଥର କ୍ଷୁଦ୍ରତମ ଅଂଶ ବୋଲାଉଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ପରୀକ୍ଷାଦ୍ୱାରା ଜଣାପଡିଲା ଯେ ପରମାଣୁର ଏହି ତିନୋଟି ଅଂଶଙ୍କୁ ମୌଳିକ କ୍ଷୁଦ୍ରତମ କଣିକା ବୋଲି କୁହାଯାଇପାରିବ ନାହିଁ । ସେଥିପାଇଁ ଭୌତିକ ବିଜ୍ଞାନରେ ଏକ ମାନକ ମଡ଼େଲ୍ (ଈଂରାଜୀରେ Standard Model) ପ୍ରସ୍ତୁତ କରାଗଲା । ଏହି ମାନକ ମଡ଼େଲର ବ୍ୟବହାର କରି ଅଦ୍ୟାବଧି ଆବିଷ୍କୃତ ବିଭିନ୍ନ ପ୍ରକାରର ମୌଳିକ କ୍ଷୁଦ୍ରକଣିକା ଓ ୩ ପ୍ରକାରର ମୌଳିକ ବଳଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି । ସମଗ୍ର ବିଶ୍ୱରେ ଗବେଷଣାରତ ବୈଜ୍ଞାନିକମାନେ କ୍ରମାଗତ ଭାବେ ଏହି ମଡ଼େଲର ବିକାଶରେ ସହଯୋଗ କରିଛନ୍ତି । ୧୯୭୦ର ଦଶନ୍ଧିରେ ପ୍ରଥମେ କ୍ୱାର୍କ୍, ୧୯୯୫ ମସିହାରେ ଉର୍ଦ୍ଧ୍ୱ କ୍ୱାର୍କ୍, ୨୦୦୦ ମସିହାରେ ଟାଉ ନ୍ୟୁଟ୍ରିନୋ ଓ ୨୦୧୩ ମସିହାରେ ହିଗ୍ସ୍ ବୋଜୋନ୍ ଭଳି କ୍ଷୁଦ୍ରକଣମାନଙ୍କ ଆବିଷ୍କାର ଏହି ମଡ଼େଲକୁ ବଳିଷ୍ଠ କରିଛି ।
ଜାପାନିଜ ଏନସେଫାଲାଇଟିସ ବା ଜେଇ (Japanese encephalitis/ JE) ଏକ ମସ୍ତିଷ୍କର (brain) ସଂକ୍ରାମକ ରୋଗ ଯାହା ଜାପାନିଜ ଏନସେଫାଲାଇଟିସ ଭୂତାଣୁଦ୍ୱାରା (Japanese encephalitis virus) ହୁଏ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ନ ଥାଏ କିନ୍ତୁ କ୍ୱଚିତ କେଶରେ ଏନସେଫାଲାଇଟିସ (inflammation of the brain occurs) ଲକ୍ଷଣ ଦେଖାଯାଏ । ରୋଗ ହେଲେ ମୁଣ୍ଡ ବିନ୍ଧା, ଜ୍ୱର, ବାନ୍ତି, ମାନସିକ ଦ୍ୱନ୍ଦବ (confusion), ଅପସ୍ମାର ବାତ (seizures) ଲକ୍ଷଣମାନ ଦେଖାଯେ । ସଂକ୍ରମଣର ୫-୧୫ ଦିନ ପରେ ଲକ୍ଷଣ ବାହାରେ ।
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦଗୁଡ଼ିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ୱୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ୱକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ୱାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ୱକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ଗ୍ରେଟ୍ ବ୍ରିଟେନ୍ ଓ ଉତ୍ତର ଆୟାର୍ଲ୍ଯାଣ୍ଡ୍ର ଯୁକ୍ତରାଜ୍ୟ, ବା ସାଧାରଣ ଭାବେ ଯୁକ୍ତରାଜ୍ୟ ଇଉରୋପୀୟ ମୂଳ ଭୂଖଣ୍ଡର ପଶ୍ଚିମ ଉପକୂଳରେ ଅବସ୍ଥିତ ଏକ ସାର୍ବଭୌମ ରାଷ୍ଟ୍ର ବା ରାଷ୍ଟ୍ରସଂଘ । ଯୁକ୍ତରାଜ୍ୟ ମଧ୍ୟରେ ଗ୍ରେଟ ବ୍ରିଟେନ ଦ୍ୱୀପ, ଆୟରଲ୍ୟାଣ୍ଡ ଦ୍ୱୀପର ଉତ୍ତରପୂର୍ବ ଭାଗ ଏବଂ ଅନେକ ଛୋଟ ଦ୍ୱୀପ ଅନ୍ତର୍ଭୁକ୍ତ । ଉତ୍ତର ଆୟରଲ୍ୟାଣ୍ଡ୍ ଓ ଆୟରଲ୍ୟାାଣ୍ଡ୍ ସାଧାରଣତନ୍ତ୍ର ମଝିରେ ସ୍ଥଳ ସୀମା ରହିଛି । ଏହାଛଡ଼ା ଯୁକ୍ତରାଜ୍ୟକୁ ଆଟଲାଣ୍ଟିକ ମହାସାଗର ଘେରିରହିଛି । ଏହାର ପୂର୍ବରେ ଉତ୍ତର ସମୁଦ୍ର, ଦକ୍ଷିଣରେ ଇଂରାଜୀ ପ୍ରଣାଳୀ ଏବଂ ଦକ୍ଷିଣ-ପଶ୍ଚିମରେ କେଲଟିକ ସାଗର ରହିଛି । ଏହାର ବେଳା ବିଶ୍ୱର ୧୨ତମ ଦୀର୍ଘ ଉପକୂଳ । ଆଇରିସ ସାଗର ଗ୍ରେଟ ବ୍ରିଟେନ ଏବଂ ଆୟରଲ୍ୟାଣ୍ଡକୁ ଅଲଗା କରିଥାଏ । ଯୁକ୍ତରାଜ୍ୟର ମୋଟ କ୍ଷେତ୍ରଫଳ ୨,୪୦,୦୦୦ ବର୍ଗ କି.ମି.