ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସାରଦା ପ୍ରସନ୍ନ ନାୟକ (୧୩ ଡିସେମ୍ବର ୧୯୨୬ – ୯ ସେପ୍ଟେମ୍ବର ୨୦୨୦) ଜଣେ ଓଡ଼ିଆ କଥାଚିତ୍ର ଗୀତିକାର ଓ ନିର୍ଦ୍ଦେଶକ ଥିଲେ । ସେ ୧୯୫୬ ମସିହାରେ ଭକ୍ତକବି ଜୟଦେବ ଚଳଚ୍ଚିତ୍ରରୁ ସହନିର୍ଦ୍ଦେଶକ ଭାବରେ ନିଜ ଚଳଚ୍ଚିତ୍ର ଜୀବନ ଆରମ୍ଭ କରିଥିଲେ । ଚଳଚ୍ଚିତ୍ର ବ୍ୟତୀତ ସେ ରେଡ଼ିଓ ଓ ଦୂରଦର୍ଶନରେ ମଧ୍ୟ ସକ୍ରିୟ ରହିଆସିଥିଲେ । ସେ ତାଙ୍କ ନିର୍ମିତ ଚଳଚ୍ଚିତ୍ର କା, ସ୍ତ୍ରୀ ଓ ସଂସାରରେ ପାରଦର୍ଶିତା ପାଇଁ ରାଷ୍ଟ୍ରପତି ପୁରସ୍କାର ଲାଭ କରିଥିଲେ । ୨୦୧୩ ମସିହାରେ ଓଡ଼ିଶା ସରକାର ତାଙ୍କୁ ଓଡ଼ିଆ ଚଳଚ୍ଚିତ୍ରର ସର୍ବୋଚ୍ଚ ସମ୍ମାନ ଜୟଦେବ ପୁରସ୍କାର ପ୍ରଦାନ କରିଥିଲେ ।
ବାଲି ତୃତୀୟା ବ୍ରତ , ଭାଦ୍ରବ ମାସ ଶୁକ୍ଳ ପକ୍ଷ ତୃତୀୟା ଦିନ ହସ୍ତା ନକ୍ଷତ୍ରରେ ପାଳନ କରାଯାଏ । ବିବାହିତା ନାରୀମାନେ ସ୍ୱାମୀଙ୍କ ଦୀର୍ଘ, ନିରାମୟ ଜୀବନ କାମନା କରି ଏହି ବ୍ରତ ରଖିଥାନ୍ତି । କେତେକ ସ୍ଥାନରେ ଅବିବାହିତା ଝିଅମାନେ ମଧ୍ୟ ସର୍ବଗୁଣସମ୍ପନ୍ନ ପତି କାମନା କରି ଏହି ବ୍ରତ ପାଳନ କରନ୍ତି । ଅତି ନିଷ୍ଠାର ସହ ତୃତୀୟା ଦିନ ସୂର୍ଯ୍ୟୋଦୟଠାରୁ ଚତୁର୍ଥୀ ଦିନ ପ୍ରତ୍ୟୁଷ ପର୍ଯ୍ୟନ୍ତ ଉପବାସ ରହିବାକୁ ହୁଏ । ଜଳସ୍ପର୍ଶ ନିଷେଧ, ଏପରିକି ଛେପ ଢୋକିବାକୁ ମଧ୍ୟ ବାରଣ କରାଯାଏ । ଏହି ବ୍ରତର ଆରାଧ୍ୟ ଦେବତା ହେଉଛନ୍ତି ମହାଦେବ । ମହାଦେବ ଯେପରି ଆଶୁତୋଷ ସେମିତି ବି ରୁଦ୍ର । ତେଣୁ ଏହି ବ୍ରତକୁ ନିଷ୍ଠାର ସହ ପାଳନ କଲେ ଅନେକ ସୁଫଳ ମିଳେ ବୋଲି ବିଶ୍ୱାସ ରହିଛି । ମା' ପାର୍ବତୀ ମୃତ୍ୟୁଞ୍ଜୟୀ ଶିବଙ୍କୁ ପତି ରୂପେ ପାଇବା ପାଇଁ କୈଳାସ ପର୍ବତରେ କଠୋର ତପ କରିଥିଲେ । ପାର୍ବତୀଙ୍କ ତପସ୍ୟାରେ ଶିବ ସନ୍ତୁଷ୍ଟ ହୋଇଥିଲେ । ତେଣୁ ବିବାହିତା ନାରୀମାନେ ବାଲି ତୃତୀୟା ଦିନ ସକାଳେ ନଦୀ ବା ପୁଷ୍କରିଣୀରେ ସ୍ନାନ କରନ୍ତି । ପୁଣି ଥରେ ଅପରାହ୍ଣରେ ସ୍ନାନ କରି ପାଣିରେ ବୁଡି ସାତ ମୁଠା ବାଲି ଆଣନ୍ତି । ସେଥିରେ ଜଳାଶୟ କୂଳରେ ଶିବ ଲିଙ୍ଗ ବା ବାଲୁଙ୍କା ପୂଜା କରନ୍ତି । ପରଦିନ ସ୍ନାନ ସମୟରେ ବାଲୁଙ୍କା ବିସର୍ଜନ କରାଯାଏ । ନୂତନ ବସ୍ତ୍ର ପରିଧାନ ପୂର୍ବକ ଚତୁର୍ଥୀ ଦିନ ବ୍ରତ ଉଦ୍ଯାପନ କରାଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କ୍ରେଡିଟ କାର୍ଡ଼ ବା ବାକି କାର୍ଡ ଏକ ଛୋଟ ପ୍ଲାଷ୍ଟିକ କାର୍ଡ ଅଟେ । ଏହି କାର୍ଡଦ୍ୱାରା ଜିନିଷପତ୍ର କିଣିଲେ ଆଗ ପଇସା ଦେବାକୁ ପଡେନାହିଁ । ପ୍ରଥମେ ବାକିରେ ଏହି କାର୍ଡ଼ଧାରୀ ଜିନିଷ କିଣି ପରେ ଏହାର ମୂଲ୍ୟ ଦେଇପାରିବେ । ଏହି କାର୍ଡଦ୍ୱାରା ଏଟିଏମ କିମ୍ବା ବ୍ୟାଙ୍କରୁ ନଗଦ ଅର୍ଥ ମଧ୍ୟ ଉଠାଯାଇ ପାରେ । କିଣିଥିବା ଜିନିଷର ପଇସା ସଠିକ ସମୟରେ ଦେଇନପାରିଲେ ଉଚ୍ଚ ହାରରେ ସୁଧ ସହିତ ମୂଳ ଦେବାକୁ ପଡ଼ିଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗାଉଟ୍ (ଅନ୍ୟ ନାମ ପୋଡାଗ୍ରା, କବିରାଜୀ ନାମ ବାତରକ୍ତ) ରୋଗ ଯେତେବେଳେ ପାଦ-ବୃଦ୍ଧାଙ୍ଗୁଳୀର ମୂଳକୁ ଧରେ ପୁନଃ ପୁନଃ ପ୍ରଦାହ ହୋଇ ଗଣ୍ଠି ଲାଲ, ଉଷ୍ମ, ଦରଜ ହୁଏ ଓ ଫୁଲିଯାଏ ।ଗଣ୍ଟି ଯନ୍ତ୍ରଣା ୨୪ ଘଣ୍ଟା ମଧ୍ୟରେ ଶୀଘ୍ର ତୀବ୍ର ହୁଏ । ପାଦକ ଅଙ୍ଗୁଳୀୟ ଗଣ୍ଠି (joint at the base of the big toe) ଅର୍ଦ୍ଧେକ କେଶ୍ରେ ପ୍ରଭାବିତ ହୁଏ । ଏହା ସହିତ ଟୋଫସ୍, ବୃକ୍କ ପ୍ରସ୍ତର (ବୃକ୍କାଶ୍ମରୀ) ଓ ୟୁରେଟ ନେଫ୍ରୋପାଥି ହୋଇପାରେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଏକାମ୍ର ନଗରୀ କହିଲେ ସାଧାରଣତଃ ପୁରୁଣା ଭୁବନେଶ୍ୱରକୁ ବୁଝାଯାଇଥାଏ। ଏହାର ଅନ୍ୟ ନାମ ତୋଷାଳି।ବର୍ତ୍ତମାନ ଏହା ଉତ୍ତର ଭୁବନେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳ ଅଧୀନରେ ଆସୁଅଛି। ଏକାମ୍ର ନଗରୀରେ ଦଶମ ଶତାବ୍ଦୀର ସହସ୍ରାଧିକ ମନ୍ଦିର ଦେଖିବାକୁ ମିଳେ। ପୁରୁଣା ଭୁବନେଶ୍ୱର କହିଲେ କପିଳେଶ୍ୱର, ସାମନ୍ତରାପୁର, ବଡଗଡ, ଲକ୍ଷ୍ମୀସାଗର, ରସୁଲଗଡ, ଲିଙ୍ଗରାଜ, ଟଙ୍କପାଣି, ଉତ୍ତରା, ଧଉଳି ଇତ୍ୟାଦି ଅଞ୍ଚଳକୁ ବୁଝାଏ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ହେଉଛି ଭାରତର ଏକ କେନ୍ଦ୍ରଶାସିତ ଅଞ୍ଚଳ ଯେଉଁଥିରେ ୫୭୨ଟି ଦ୍ୱୀପ ରହିଛି, ଯେଉଁଥିରୁ କେବଳ ୩୮ଟିରେ ଜନବସତି ରହିଛି। ଏହି ଦ୍ୱୀପପୁଞ୍ଜକୁ ଦୁଇଟି ମୁଖ୍ୟ ସମୂହରେ ବିଭକ୍ତ କରାଯାଇଛିଃ ଉତ୍ତର ଆଣ୍ଡାମାନ ଦ୍ୱୀପ ଏବଂ ଦକ୍ଷିଣ ନିକୋବର ଦ୍ୱୀପ, ଯାହା ୧୫୦ କିଲୋମିଟର (୯୩ ମାଇଲ) ପ୍ରଶସ୍ତ ଚ୍ୟାନେଲ ଦ୍ୱାରା ପୃଥକ ହୋଇଛି। ଏହି ଅଞ୍ଚଳର ରାଜଧାନୀ ଏବଂ ସର୍ବବୃହତ ସହର, ପୋର୍ଟ ବ୍ଲେୟାର (ଆନୁଷ୍ଠାନିକ ଭାବେ ଶ୍ରୀ ବିଜୟ ପୁରମ୍) ଚେନ୍ନାଇ ଠାରୁ ପ୍ରାୟ ୧,୧୯୦ କିଲୋମିଟର (୭୪୦ ମାଇଲ) ଏବଂ ଭାରତର ମୁଖ୍ୟ ଭୂଖଣ୍ଡରେ କୋଲକାତା ଠାରୁ ୧,୨୫୫ କିଲୋମିଟର (୭୮୦ ମାଇଲ) ଦୂରରେ ଅବସ୍ଥିତ। ଏହି ଦ୍ୱୀପପୁଞ୍ଜଗୁଡ଼ିକ ପଶ୍ଚିମରେ ବଙ୍ଗୋପସାଗର ଏବଂ ପୂର୍ବରେ ଆଣ୍ଡାମାନ ସାଗର ମଧ୍ୟରେ ଅବସ୍ଥିତ। ହୁଗୁଳି ନଦୀ ମୁହାଣରୁ ଏହାର ଉତ୍ତରତମ ବିନ୍ଦୁ ୯୦୧ କିଲୋମିଟର (୫୬୦ ମାଇଲ) ଦୂରରେ ଅବସ୍ଥିତ। ଇନ୍ଦିରା ପଏଣ୍ଟ, ଗ୍ରେଟ ନିକୋବରର ଦକ୍ଷିଣ ପ୍ରାନ୍ତରେ ୬° ୪୫'୧୦ "N ଏବଂ ୯୩° ୪୯'୩୬" E ରେ ଅବସ୍ଥିତ, ଭାରତର ଦକ୍ଷିଣତମ ବିନ୍ଦୁ । ଏହି ଅଞ୍ଚଳ ଇଣ୍ଡୋନେସିଆ ସହିତ ପ୍ରାୟ ୧୬୫ କିଲୋମିଟର (ଦକ୍ଷିଣରେ ୧୦୩ ମାଇଲ), ମିଆଁମାର ୨୮୦ କିଲୋମିଟର (ଉତ୍ତର-ପୂର୍ବରେ ୧୭୦ ମାଇଲ) ଏବଂ ଦକ୍ଷିଣ-ପୂର୍ବରେ ୬୫୦ କିଲୋମିଟର (୪୦୦ ମାଇଲ) ଥାଇଲାଣ୍ଡ ସହିତ ସାମୁଦ୍ରିକ ସୀମା ଅଂଶୀଦାର କରେ । ୨୦୧୧ ଜନଗଣନା ଅନୁଯାୟୀ, ଏହି ଦ୍ୱୀପପୁଞ୍ଜଗୁଡ଼ିକର ମୋଟ କ୍ଷେତ୍ରଫଳ ପାଖାପାଖି ୮,୨୪୯ ବର୍ଗ କି. ମି.
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ପଣ୍ଡିତ ବାଇକୋଳି ମହାପାତ୍ର (୧୬ ଡିସେମ୍ବର ୧୯୦୮ - ୨୦ ଡିସେମ୍ବର ୧୯୭୭) ଏକାଧାରରେ ଜଣେ ସାହିତ୍ୟିକ, ଐତିହାସିକ, ଶିକ୍ଷାବିତ୍ ଓ ସଂଗଠକ ଥିଲେ । ସେ ଗଞ୍ଜାମ ଜିଲ୍ଲାର ଖଲିକୋଟ ଅନ୍ତର୍ଗତ ବାଲୁଙ୍କେଶ୍ୱର ଶାସନରେ ୧୯୦୮ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଅଗ୍ରଜମାନେ ଅକାଳରେ ମରି ଯାଉଥିବାରୁ ତାଙ୍କ ପିତାମାତା ଅପମୃତ୍ୟୁ ଟଳାଇବା ଉଦ୍ଦେଶ୍ୟରେ ତାଙ୍କର ନାମ ବାଇକୋଳି (ବିଷାକ୍ତ କୋଳି) ରଖିଥିଲେ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଛତା ଏକ ପ୍ରକାର ଚାନ୍ଦୁଆ, ଯାହା ସୂର୍ଯ୍ୟୋତ୍ତାପ ଏବଂ ବର୍ଷା ପାଣିରୁ ଶରୀରକୁ ରକ୍ଷା କରିଥାଏ । ଏହା ଏକ ସୁବହନୀୟ ଉପକରଣ ହିସାବରେ କାମ କରିଥାଏ, ଯାହାକୁ କି ସହଜ ଭାବେ ହାତରେ ଧରି କୌଣସି ସ୍ଥାନକୁ ନେଇ ହେବ । ଦୁନିଆରେ ବିଭିନ୍ନ ପ୍ରକାରର ଛତା ଦେଖିବାକୁ ମିଳେ । ଉଦାହରଣ ସ୍ୱରୁପ, ଜଳରୋଧକ ଛତା, ରଙ୍ଗୀନ ଛତା, ଉତ୍ତାପ ନିରୋଧୀ ଛତା ଇତ୍ୟାଦି । ଜଳରୋଧକ ଛତା ବିଶେଷ କରି ବର୍ଷା ଦିନେ ବ୍ୟବହାର କରାଯାଏ । ରଙ୍ଗୀନ ଛତା ତଥା ଉତ୍ତାପ ଅବଶୋଷକାରୀ ଛତା ଖରାରୁ ରକ୍ଷା ପାଇବା ପାଇଁ ବ୍ୟବହାର କରାଯାଇଥାଏ ଏବଂ ଏହ ଜଳନିରୋଧୀ ଅଟନ୍ତି ନାହିଁ। ଛତାର ବ୍ୟବହାର କେବଳ ପାଣିପାଗ ଉପରେ ନିର୍ଭର କରେ ନାହିଁ, ବରଂ ଏହାକୁ ଭିନ୍ନ ଭିନ୍ନ ପର୍ବପର୍ବାଣି, ବିବାହୋତ୍ସବ, ଚିତ୍ରୋତ୍ତଳନ ଆଦିରେ ଉପଯୋଗ କରାଯାଇଥାଏ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଭୀମା ଭୂଇଁଆ ଗୋପାଳବଲ୍ଲଭ ଦାସଙ୍କଦ୍ୱାରା ଲିଖିତ ଉତ୍ତର ଓଡ଼ିଶାର ଭୂୟାଁ ଜନଜାତି ଉପରେ ଆଧାରିତ ପ୍ରଥମ ଉପନ୍ୟାସ । ୧୮୮୯ ମସିହାରେ ଏହା ଲେଖା ଯାଇଥିବାର ଅନେକ ସମାଲୋଚକଙ୍କର ମତ । ଏହା ୧୯୦୮ ମସିହାରେ ଭୀମା ଭୂଇଁଆ ନାମରେ କଟକ ଏଡ଼ୱର୍ଡ଼ ପ୍ରେସ୍ରୁ ପ୍ରକାଶିତ ହୋଇଥିଲା । ଉମେଶଚନ୍ଦ୍ର ସରକାରଙ୍କ ୧୮୮୮ର ପଦ୍ମମାଳୀ ଓ ରାମଶଙ୍କର ରାୟଙ୍କ ୧୮୯୧ର ବିବାସିନୀ ପରେ ଭୀମା ଭୂଇଁଆକୁ ତୃତୀୟ ଓଡ଼ିଆ ଉପନ୍ୟାସ ବୋଲି ଗଣନା କରାଯାଏ । ୧୯୬୪ ମସିହାରେ ସରଳା ଦେବୀଙ୍କ ସମ୍ପାଦନାରେ ଏହା କଟକର ବିଦ୍ୟାପୁରୀ ପ୍ରକାଶନା ସଂସ୍ଥାଦ୍ୱାରା ଭୀମା ଭୂୟାଁ ନାମରେ ପୁନଃ ପ୍ରକାଶିତ ହୋଇଥିଲା । ମୂଳତଃ ପ୍ରଣୟାଶ୍ରୟୀ ଏହି ଉପନ୍ୟାସରେ ଭୂୟାଁମାନଙ୍କର ବୀରତ୍ୱ ସଙ୍ଗେ ସଙ୍ଗେ ନୃଶଂସତା, ଭୂୟାଁ ଗ୍ରାମ ମଧ୍ୟରେ ଧାଙ୍ଗଡ଼ା-ଧାଙ୍ଗଡ଼ୀ ଘର, ରାଜପୁରୁଷମାନଙ୍କ ପ୍ରତି ଶ୍ରଦ୍ଧା ଓ ସାଧାରଣଙ୍କ ପ୍ରତି ଆତିଥେୟତା ତଥା ଯୁବକଯୁବତୀ ଓ ବୃଦ୍ଧବୃଦ୍ଧାମାନଙ୍କର ସାମାଜିକତା ମଧ୍ୟରେ ମୂଳ ନାୟକ ଭୀମାଭୂୟାଁର ପୌରୁଷ ଓ ପ୍ରେମର ଚିତ୍ର ଅଙ୍କିତ ହୋଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ୱାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ପ୍ରତିଶବ୍ଦ - ଆନିମିଆ, ରକ୍ତ କ୍ଷୀଣତା ରକ୍ତହୀନତା ଶବ୍ଦର ଆକ୍ଷରିକ ଅର୍ଥ ଅଳ୍ପ ରକ୍ତ ହେଲେ ମଧ୍ୟ ପ୍ରକୃତରେ ରକ୍ତରେ ଥିବା ଲୋହିତ ରକ୍ତ କଣିକା ଅଳ୍ପ ତଥା ତୃଟିଯୁକ୍ତ ଥିଲେ ବା ହେମୋଗ୍ଲୋବିନ ପରିମାଣ କମ ଥିଲେ ରକ୍ତହୀନତା ରୋଗ ନିର୍ଣ୍ଣୟ କରାଯାଏ ।> ହେମୋଗ୍ଲୋବିନର ଅମ୍ଳଜାନ ଗ୍ରହଣ କରିବା ଶକ୍ତି କମ ଥିଲେ ମଧ୍ୟ ରକ୍ତହୀନତା କୁହାଯାଏ । ଇଂରାଜୀରେ ଏହି ରୋଗକୁ ଆନିମିଆ କହନ୍ତି । ଆନିମିଆ ଶବ୍ଦଟି ପୁରୁଣା ଗ୍ରୀକ ଶବ୍ଦରୁ ଆସିଛି ଯାହାର ଅର୍ଥ 'ନାହିଁ ରକ୍ତ' (ἀναιμία anaimia, meaning lack of blood, from ἀν- an-, "not" + αἷμα haima, "blood")। ଲୋହିତ ରକ୍ତ କଣିକାରେ ଥିବା ହେମୋଗ୍ଲୋବିନ ଫୁସଫୁସରୁ ଅମ୍ଳଜାନ ସଂଗ୍ରହ କରି ସାରା ଶରୀରରେ ଥିବା କ୍ୟାପିଲାରି ବା ଅତି ସୂକ୍ଷ୍ମ ରକ୍ତ ନଳୀ (Capillary) ପର୍ଯ୍ୟନ୍ତ ବହନ କରେ ଓ ଦେହର ସମୁଦାୟ ଜୀବକୋଷଙ୍କୁ ବାଣ୍ଟେ । ଏଣୁ ଆନିମିଆ ହେଲେ ରକ୍ତରେ ଅମ୍ଳଜାନ ପରିମାଣ କମିଯାଏ ଯାହାକୁ ହାଇପୋକ୍ସିଆ କହନ୍ତି । ପ୍ରତ୍ୟେକ ଜୀବକୋଷ ବଞ୍ଚିବା ନିମନ୍ତେ ଅମ୍ଳଜାନ ଆବଶ୍ୟକ କରେ, ଏଣୁ ହେମୋଗ୍ଲୋବିନ ଅଭାବରେ ଅମ୍ଳଜାନ ଅଭାବ ହୁଏ ଓ ଏହାର ଅଭାବ ହେଲେ ଅନେକ ପ୍ରକାର ଲକ୍ଷଣ ପ୍ରକାଶ ପାଏ । ଆନିମିଆ ଧୀରେ ଧୀରେ ଆସିଲେ ଲକ୍ଷଣ ଅସ୍ପଷ୍ଟ ହୁଏ: ଥକ୍କାଣ, ଦୂର୍ବଳତା, ଛୋଟ ଶ୍ୱାସକ୍ରିୟା ବା ବ୍ୟାୟାମ ଅକ୍ଷମତା ଦେଖାଯାଏ । ଶୀଘ୍ର ହେଉଥିବା ଆନିମିଆ ଲକ୍ଷଣ: ଚିତ୍ତଭ୍ରମ ହୁଏ, ଅଚେତ ହେବା ଭଳି ଲାଗେ ଓ ଅଧିକ ଶୋଷ ହୁଏ । ଶେତା ଦେଖାଯିବା ନିମନ୍ତେ ଅଧିକ ଆନିମିଆ ଆବଶ୍ୟକ । ଅନ୍ତର୍ନିହିତ କାରଣ ଅନୁସାରେ ଅନ୍ୟାନ୍ୟ ଲକ୍ଷଣ ଦେଖାଯାଏ । ରକ୍ତସ୍ରାବ, ଲୋହିତ ରକ୍ତ କଣିକା (ଲୋ.ର.କ.) କମ୍ ତିଆରି ଓ ଅଧିକ ଲୋ.ର.କ. ଭାଙ୍ଗିବା- ଏହି ତିନି କାରଣ ଯୋଗୁ ରୋଗ ହୁଏ । ରକ୍ତକ୍ଷୟର କାରଣ ମଧ୍ୟରେ ଆଘାତ ଖାଦ୍ୟନଳୀ ରକ୍ତସ୍ରାବ ପ୍ରଧାନ । ସ୍ୱଳ୍ପ ତିଆରି କାରଣମାନଙ୍କ ମଧ୍ୟରେ ଦେହରେ ଲୌହ ଅଭାବ, ଭିଟାମିନ ବି୧୨ ଅଭାବ, ଥାଲାସେମିଆ ଓ ଅନେକ ଅସ୍ଥିମଜ୍ଜା ଅର୍ବୁଦ ପ୍ରଧାନ । ଅଧିକ ଭାଙ୍ଗିବା କାରଣ ମଧ୍ୟରେ ମ୍ୟାଲେରିଆ ଓ କେତେକ ଅଟୋଇମ୍ମ୍ୟୁନ ରୋଗ ପ୍ରଧାନ । ଲୋ.ର.କ.ର ଆକାର (size of red blood cells) ଓ ପ୍ରତି କଣିକାରେ ଥିବା ହେମୋଗ୍ଲୋବିନ ପରିମାଣ (amount of hemoglobin in each cell) ଅନୁସାରେ ଏହାକୁ ବର୍ଗୀକରଣ କରାଯାଏ । ଲୋ.ର.କ. ଛୋଟ ହେଲେ ମାଇକ୍ରୋସାଇଟିକ ଆନିମିଆ, ବଡ଼ ହେଲେ ମାକ୍ରୋସାଇଟିକ ଆନିମିଆ ଓ ଅପରିବର୍ତ୍ତିତ ଥିଲେ ନର୍ମୋସାଇଟିକ ଆନିମିଆ କୁହାଯାଏ । ଆନିମିଆ ରୋଗ ନିର୍ଣ୍ଣୟ କରିବା ନିମନ୍ତେ ହେମୋଗ୍ଲୋବିନ ପୁରୁଷଙ୍କଠାରେ ୧୩ରୁ୧୪ଗ୍ରା/ଡେ.ଲି.
ପାରାଦୀପ , ଜଗତସିଂହପୁର ଜିଲ୍ଲାର ଏକ ପ୍ରମୂଖ ସହର ଓ ବାଣିଜ୍ୟ କେନ୍ଦ୍ର । ଏଠାରେ ଭାରତର ଏକ ପ୍ରଧାନ ବନ୍ଦର ରହିଛି । ପାରାଦୀପ ପୂର୍ବ ଭାରତରେ ସାମୁଦ୍ରିକ ବାଣିଜ୍ୟର ଏକ ପ୍ରମୁଖ ସ୍ଥାନ । ଏଠାରେ ବନ୍ଦର ବ୍ୟତୀତ ଅନେକ ଛୋଟ ବଡ଼ କଳ କାରଖାନା ଗଢ଼ି ଉଠିଛି । କଞ୍ଚାମାଲ ଆମଦାନୀର ସୁବିଧା ହେତୁ ସାର କାରଖାନା, ତୈଳ ବିଶୋଧନାଗାର ଆଦି ଶିଳ୍ପ ସ୍ଥାପିତ ହୋଇଛି ।କ୍ରମବର୍ଦ୍ଧିଷ୍ଣୁ ଶିଳ୍ପ ଓ ଜନସଂଖ୍ୟା ଯୋଗୁ ଏହି ସହର ଧୀରେ ଧୀରେ ପ୍ରସାରିତ ହେଉଛି । ଏହି ସହର ଓଡ଼ିଶାର ଏକ ପ୍ରମୁଖ ଜାତୀୟ ଓ ଅନ୍ତର୍ଜାତୀୟ ବାଣିଜ୍ୟ ସ୍ଥାନ ରୂପେ ଓଡ଼ିଶା ଅର୍ଥନୀତିକୁ ବିପୁଳ ଭାବେ ପ୍ରଭାବିତ କରିଛି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।
ଗଣେଶଙ୍କ ପତ୍ନୀ ଓ ଗଣେଶଙ୍କ ବୈବାହିକ ସ୍ଥିତି ବିଷୟ ବିଭିନ୍ନ ପୌରାଣିକ ଗ୍ରନ୍ଥମାନଙ୍କରେ ଭିନ୍ନ ଭିନ୍ନ ଥାଏ ଓ ଏହା ପଣ୍ଡିତମାନଙ୍କର ସମୀକ୍ଷାକୁ ଖୋରାକ ଯୋଗାଏ । ତାଙ୍କର ଭିନ୍ନ ଭିନ୍ନ ପତ୍ନୀ ବିଷୟରେ ଲେଖାଥାଏ । ଏକ ପୌରାଣିକ ଗାଥାରେ ସେ ଅବିବାହିତ ବା ବ୍ରହ୍ମଚାରୀ ଥିବା ଲେଖାଅଛି । ଅନ୍ୟ କେତେକ କଥାରେ ତାଙ୍କର ବୁଦ୍ଧି (ବୁଝିବା ଶକ୍ତି), ସିଦ୍ଧି (ସାଫଲ୍ୟ) ଓ ରିଦ୍ଧି (ସମୃଦ୍ଧି) ନାମକ ତିନି ପତ୍ନୀ ଥିବା ଉଲ୍ଲେଖ ଅଛି ଓ ଏହି ତିନି ଗୁଣକୁ ମାନବୀକରଣ କରି ତିନି ପତ୍ନୀ ଭାବରେ ବର୍ଣ୍ଣନା କରାଯାଇଛି । ଅନ୍ୟ ଏକ ବୃତ୍ତାନ୍ତରେ କଳା ଓ ସଂସ୍କୃତିର ଦେବୀ ସରସ୍ୱତୀଙ୍କ ସହିତ ତାଙ୍କୁ ସଂଯୁକ୍ତ କରାଯାଇଛି । ବେଙ୍ଗଲରେ ତାଙ୍କୁ କଦଳୀ ବୃକ୍ଷ ସହିତ ଯୋଗସୂତ୍ର ଥିବା କୁହାଯାଏ । ସାଧାରଣତଃ ତାଙ୍କର ରଚନାତ୍ମକ ଶକ୍ତିକୁ ତାଙ୍କର ପତ୍ନୀ ଭାବରେ ଉପସ୍ଥାପନ କରାଯାଏ । ତାଙ୍କର ଏକ ପତ୍ନୀ ଥିବା ବା ଅନାମଧେୟ ଦାସୀ ପତ୍ନୀ ଥିବା ଦର୍ଶାଯାଏ ।
ଶ୍ରୀରାଧା, ୧୯୮୪ରେ ରମାକାନ୍ତ ରଥଙ୍କଦ୍ୱାରା ରଚିତ ଏକ କବିତା ସଙ୍କଳନ । କବି ରମାକାନ୍ତ ରଥଙ୍କୁ ଏଥି ପାଇଁ ୧୯୯୨ରେ ସରସ୍ୱତୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଭରତବର୍ଷର କାବ୍ୟ ସାହିତ୍ୟରେ 'ଶ୍ରୀରାଧା' ଏକ କ୍ଲାସିକ ସୃଷ୍ଟିର ମାନ୍ୟତା ପାଇଛି । ଏହା ଇଂରାଜୀ ଓ ଆଠଟି ଭାରତୀୟ ଭାଷାରେ ଅନୁଦିତ ହୋଇ ବିପୁଳ ପାଠକୀୟ ଶ୍ରଦ୍ଧା ଲାଭ କରିଛି । ଇଂରାଜୀ ଭାଷାକୁ ଅନୁବାଦ ନିଜେ ଲେଖକ ରମାକାନ୍ତ ରଥ କରିଛନ୍ତି ।