ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
କିମ୍ବଦନ୍ତୀ ହକି ଖେଳାଳୀ ସ୍ୱର୍ଗତ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯କୁ ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ଦିବସ ପାଳନ କରୁଛନ୍ତି ।୧୯୯୫ ମସିହାଠାରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳିତ ହେଉଛି । ଏହି ଦିନ ଭାରତର ରାଷ୍ଟ୍ରପତି କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରିଥାନ୍ତି ।
ଦାଶ ବେନହୁର (ଜନ୍ମ ୩ ଅଗଷ୍ଟ ୧୯୫୩) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର । ଶିଶୁ ସାହିତ୍ୟ, କ୍ଷୁଦ୍ରଗଳ୍ପ ଓ ଉପନ୍ୟାସ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ତାଙ୍କର ଅବଦାନ ରହିଛି । ପ୍ରବନ୍ଧ ଓ ଗବେଷଣାତ୍ମକ ନିବନ୍ଧ ଆଦି ଲେଖିବାକୁ ସେ ନିଜ ନାମ ଜିତେନ୍ଦ୍ର ନାରାୟଣ ଦାଶ ବ୍ୟବହାର କରୁଥିବା ସମୟରେ ଗଳ୍ପ ଓ ଶିଶୁ ସାହିତ୍ୟ ଦାଶ ବେନହୁର ନାମରେ ଲେଖିଥାନ୍ତି । ଅଧ୍ୟାପନାକୁ ପେସା ଭାବରେ ଗ୍ରହଣ କରିଥିବା ଦାଶ ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ ସେବା ନିବୃତ ହୋଇସାରିଛନ୍ତି । ସାହିତ୍ୟ ଓ ଅଧ୍ୟାପନା ବ୍ୟତିତ ସେ ଜଣେ ସଂଗଠକ ହିସାବରେ 'ପ୍ରଫୁଲ୍ଲ କର ଫାଉଣ୍ଡେସନ, ଇଟିକିଲି ମିଟିକିଲି, ଆମ ଓଡ଼ିଶା ଆଦି ଅନୁଷ୍ଠାନମାନଙ୍କ ସହିତ ଜଡ଼ିତ ଅଛନ୍ତି । ସେ ଆଦିବାସୀ ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ 'ସର୍ଗୀଫୁଲ' ନାମକ ପତ୍ରିକାର ସମ୍ପାଦନା ମଧ୍ୟ କରିଥାନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଚନ୍ଦକା ହାତୀ ଅଭୟାରଣ୍ୟ ଏକ ବନ୍ୟପ୍ରାଣୀ ସଂରକ୍ଷଣ ପ୍ରକଳ୍ପ ଯାହା ଭାରତୀୟ ରାଜ୍ୟ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଉତ୍ତର ପଶ୍ଚିମ କୋଣରେ ଅବସ୍ଥିତ । ପୂର୍ବଘାଟ ପର୍ବତମାଳା ଖୋର୍ଦ୍ଧା ପାର୍ବତ୍ୟ ଅଞ୍ଚଳର ଜୈବିକ କ୍ଷେତ୍ରକୁ ଲାଗିକରି ଚନ୍ଦକା ଅଭୟାରଣ୍ୟ ୧୭୫.୭୯ ବର୍ଗ କିଲୋମିଟର (୬୭.୮୭ ବର୍ଗ ମିଟର) ବ୍ୟାପୀ ଖୋର୍ଦ୍ଧା ଓ କଟକ ଜିଲ୍ଲାର ଜଙ୍ଗଲ ଜମି ଓ ଛୋଟବଡ ପାହାଡ଼କୁ ନେଇ ଗଠିତ । ଏହା ଡିସେମ୍ବର ୧୯୮୨ରେ ହାତୀ ଅଭୟାରଣ୍ୟ ଭାବେ ମାନ୍ୟତା ପାଇଥିଲା ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଷଠି ଓଷା (ଷଠି ବ୍ରତ ଓ ଷଷ୍ଠୀ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ପାରମ୍ପାରିକ ଓଷା । ଷଠି ଠାକୁରାଣୀଙ୍କୁ ଓଡ଼ିଶାରେ ଜନ୍ମଦେବୀ, ଜନ୍ମଦା,ଦେବସେନା ବାଳକଦା ବୋଲି କୁହାଯାଏ । ଷୋଡ଼ଶ ମାତୃକା (ଗୌରୀ ମେଧା ସଚୀ ଆଦି) ମଧ୍ୟରେ ତାଙ୍କୁ ଦେବସେନା ନାମରେ ପୂଜା କରାଯାଏ। ଗାଁରେ ମା'ମାନେ ତାଙ୍କୁ ପୂଜା କରିଥାନ୍ତି । ଷଠି ଠାକୁରାଣୀଙ୍କୁ ପିଲାଙ୍କ ଭଲ ମନ୍ଦ ପାଇଁ ମା'ମାନେ ପୂଜିଥାନ୍ତି ।
ଭାଦ୍ର ଶୁକ୍ଳ ସପ୍ତମୀଦିନ କୁକ୍କୁଟୀ ବ୍ରତ ପାଳନ ହୁଏ । ବଙ୍ଗ ଓ ଓଡ଼ିଶାରେ ଏହା ବିଶେଷ ଭାବରେ ପ୍ରଚଳିତ । ମୁଖ୍ୟତଃ ଏହି ବ୍ରତ ଛୋଟନାଗପୁର ଅଞ୍ଚଳର ପାର୍ବତ୍ୟ ଗୋଷ୍ଠିରୁ ଆସି କ୍ରମେ ହିନ୍ଦୁ ଧର୍ମରେ ପ୍ରବେଶ କରିଛି । କୁକ୍ କୁଟୀ ସେହିମାନଙ୍କର ଦେବୀ । ପୂର୍ବକାଳର ବହୁ ଅହିନ୍ଦୁ ଦେବୀଙ୍କ ପରି, ସେ ମଧ୍ୟ ଆର୍ଯ୍ୟହିନ୍ଦୁମାନଙ୍କଦ୍ୱାରା ପୂଜିତ ହୋଇଛନ୍ତି । ବ୍ରତଟି ହିନ୍ଦୁଧର୍ମ ଛାଞ୍ଚରେ ଉତୁରିଛି । ଯୁଧିଷ୍ଠିର-ଶ୍ରୀକୃଷ୍ଣ ଆଳାପରୁ ବ୍ରତକଥା ଆରମ୍ଭ । ଯୁଧିଷ୍ଠିରଙ୍କ ପ୍ରଶ୍ନର ଉତ୍ତର ଦେଇ ଶ୍ରୀକୃଷ୍ଣ, ଲୋମଶ ମୁନିଙ୍କ କଥା ଉଠାଇଛନ୍ତି । ଥରେ ସେ ପୁଣ୍ୟତପା ମଥୁରାରେ ପହଁଞ୍ଚିଲେ । ଦେବକୀ ଓ ବାସୁଦେବ ତାଙ୍କର ଅଭ୍ୟର୍ଥନା କଲେ । ଦେବକୀଙ୍କର ବିଷାଦମଳିନ ମୁଖ ଦେଖି ଲୋମଶ ତାଙ୍କୁ କୁକ୍କୁଟୀ ବ୍ରତ କଥା କହିଲେ । ଏହିବ୍ରତ ପୂର୍ବେ ଅଯୋଧ୍ୟାର ରାଜା ନହୁଷଙ୍କ ପତ୍ନୀ ଚନ୍ଦ୍ରମୁଖୀ ଓ ତାଙ୍କ ପୁରୋହିତଙ୍କ ପତ୍ନୀ ମେନା ସରଯୂ ନଦୀ କୂଳରେ କରିଥିଲେ । ଚନ୍ଦ୍ରମୁଖୀ ଓ ମେନା ସରଯୂ କୂଳରେ ସ୍ନାନ ପାଇଁ ଯାଇଥିଲେ । ସେଠାରେ କେତେକ ରମଣୀ ସ୍ନାନ ପରେ ମଣ୍ଡଳ କାଟି ସେଥିରେ ଉମା ମହେଶ୍ୱରଙ୍କ ପ୍ରତିମୂର୍ତ୍ତି ଆଙ୍କି ପୂଜା କରୁଥିଲେ । ପୂଜା ସାରି ହାତରେ ରକ୍ତ ବର୍ଣ୍ଣର ଡୋରକି ବାନ୍ଧିଲେ । ଚନ୍ଦ୍ରମୁଖୀ ଓ ମେନା ସେମାନଙ୍କଠାରୁ ବ୍ରତଫଳ ଓ ପାଳନ ବିଧି ବୁଝିଲେ । ସେଦିନ ସେମାନଙ୍କ ସହ ବ୍ରତ କରି ହାତରେ ଡୋରକ ବାନ୍ଧି ବାହୁଡ଼ିଲେ । ତା’ପରେ ଚନ୍ଦ୍ରମୁଖୀ ଗର୍ବରେ ଡୋରକ ପିନ୍ଧିଲେ ନାହିଁ । ମେନା ମଧ୍ୟ ବ୍ରତ ଭୁଲିଗଲେ । ଫଳରେ ଚନ୍ଦ୍ରମୁଖୀ ମର୍କଟୀ ଓ ମେନା କୁକ୍କୁଟୀ ହୋଇ ଜନ୍ମ ହେଲେ । କିନ୍ତୁ ମେନା ଏହି କୁକ୍କୁଟୀ ଜନ୍ମରେ ପୁନର୍ଜନ୍ମ କଥା ମନେରଖିଥିଲେ । ତେଣୁ ସେ ମନେମନେ ଶିବଙ୍କୁ ସ୍ତୁତି କଲେ । କିଛି କାଳପରେ ଚନ୍ଦ୍ରମୁଖୀ ଗୋଟିଏ ରାଜ୍ୟରେ ଇଶ୍ୱରୀ ନାମକ ରାଣୀ ହୋଇ ଜନ୍ମ ହେଲେ । ମେନା ସେହିରାଜ୍ୟର ରାଜପୁରୋହିତ ଅଗ୍ନିମନ୍ଦିଙ୍କ ପତ୍ନୀ ହେଲେ । ଏଜନ୍ମରେ ତାଙ୍କର ନାଁ ହେଲା ଭୂଷଣା । ସେ ପୂର୍ବଜନ୍ମ ପରି ଏଜନ୍ମରେ ମଧ୍ୟ ଜାତିସ୍ମର ହେଲେ । ଭୂଷଣା ବ୍ରତ ପାଳୁଥିଲେ । ତାଙ୍କର ଆଠଟି ପୁତ୍ର ଥିଲେ । ପାରିବାରିକ ଜୀବନ ଆନନ୍ଦମୟ ଥିଲା । ଅପରପକ୍ଷରେ ଇଶ୍ୱରୀଙ୍କର ଗୋଟିଏ ପୁଅ । ସେ ସବୁବେଳେ ରୁଗ୍ଣ । ନଅ ବର୍ଷ ବୟସରେ ତାର ମୃତ୍ୟୁ ଘଟିଲା । ଇଶ୍ୱରୀ ଦୁଃଖରେ ଭାଙ୍ଗି ପଡ଼ିଲେ । ଭୂଷଣା ତାଙ୍କ ପ୍ରତି ସମବେଦନାଶୀଳା ଥିଲେ । ମାତ୍ର ଇଶ୍ୱରୀ ଇର୍ଷା ପରାୟଣ ଥିଲେ । ସେ ଛଳନାପୂର୍ଣ୍ଣ ବ୍ୟବହାର ଦେଖାଇ ଭୂଷଣାଙ୍କ ପୁତ୍ରମାନଙ୍କୁ ମାରିବାକୁ ବହୁବାର ଉଦ୍ୟମ କରିଲେ । ମାତ୍ର ଭୂଷଣାଙ୍କର ବ୍ରତ ପ୍ରଭାବରୁ ତାଙ୍କର କିଛି କ୍ଷତି ହେଲାନାହିଁ । ଦିନେ ଇଶ୍ୱରୀ ଭୂଷଣାଙ୍କଠାରୁ ପୂର୍ବଜନ୍ମ ପ୍ରସଙ୍ଗ ଓ ବ୍ରତ ପାଳନ ପାଇଁ ପରାମର୍ଶ ଶୁଣିଲେ । ବିଧି ଅନୁସାରେ ବ୍ରତ ପାଳିଲେ । ତାଙ୍କ ଜୀବନରେ ପୁଣି ସୁଖ ସମ୍ପଦ ଫେରିଲା । ମୃତବତ୍ସା ଦୋଷ ଦୂର କରିବା ପାଇଁ ଏହି ବ୍ରତ ପାଳନ କରାଯାଏ । ଲୋମଶ ମୁନି ଦେବକୀଙ୍କୁ ଏହି ବ୍ରତ ପାଳନ ପାଇଁ କହିଥିଲେ । କୁକ୍କୁଟୀ ବ୍ରତ ଅନ୍ୟ ବ୍ରତ ଓ ଓଷା ପରି ସକଳ ଧର୍ମ କୃତ୍ୟ । ଏଥିରେ ଉମା ମହେଶ୍ୱରଙ୍କୁ ପୂଜା କରାଯାଏ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । କବି ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ସର୍ବାଧିକ ଓ ସର୍ବୋତ୍ତମ ଗବେଷଣା ଓ ସମାଲୋଚନା କରିଥିବା ଏକବିଂଶ ଶତାବ୍ଦୀର ବିଶିଷ୍ଟ ସମାଲୋଚକ, ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ୨୮ଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ ।
ହରପ୍ପା ( Punjabi pronunciation: [ɦəɽəppaː] ; ଉର୍ଦ୍ଦୁ / Punjabi ) ପାକିସ୍ତାନର ପଞ୍ଜାବର ଏକ ପ୍ରତ୍ନତାତ୍ତ୍ୱିକ ସ୍ଥାନ, ସାହିୱାଲର ପ୍ରାୟ 24 km (15 mi) ପଶ୍ଚିମରେ ଏହି ସାଇଟ୍ ରବି ନଦୀର ପୂର୍ବ ପଥ ନିକଟରେ ଅବସ୍ଥିତ । ରବି ନଦୀ ନିକଟରେ ଅବସ୍ଥିତ ଏକ ଆଧୁନିକ ଗାଁରୁ ଏହାର ନାମକରଣ ହୋଇଛି । ରବି ନଦୀ ବର୍ତ୍ତମାନ 8 km (5.0 mi) ଉତ୍ତରରେ ଚାଲୁଛି । ହରପ୍ପାର ପ୍ରାଚୀନ ସ୍ଥାନଟି ବର୍ତ୍ତମାନର ହରପ୍ପା ଗାଁରୁ 1 km (0.62 mi)ରୁ କମ୍ ଦୂରରେ ଅବସ୍ଥିତ । ଯଦିଓ ଆଧୁନିକ ହରପ୍ପା ବ୍ରିଟିଶ ରାଜ ସମୟରୁ ଏକ ପୁରୁଣା ରେଳ ଷ୍ଟେସନ ଅଛି, ଏହା ଆଜି ୧୫,୦୦୦ ଲୋକଙ୍କ ଏକ ଛୋଟ ଛକ ସହର ଅଟେ ।