ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଦାଶରଥି ପଟ୍ଟନାୟକ (୧୨ ଜୁଲାଇ ୧୯୦୭ - ୧୨ ସେପ୍ଟେମ୍ବର ୧୯୯୭) ଓଡ଼ିଶାର ଜଣେ ସଂଗ୍ରାହକ ଓ ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା । ସେ ଦଶ ପଇସାର ରାଜା ଓ ଖୁଣ୍ଟାତଡ଼ା ରାଜା ଓ ଦାଶିଆ ଅଜା ଭାବରେ ମଧ୍ୟ ପରିଚିତ । ସେ ବାଞ୍ଛାନିଧି ପାଠାଗାର (୧୯୫୯), ଶ୍ରୀ ଅରବିନ୍ଦ ସଂଗ୍ରହାଳୟ (୧୯୭୩) ଓ ଯଦୁମଣି ସାହିତ୍ୟ ସଂସଦ (୧୯୭୫) ପ୍ରତିଷ୍ଠା କରିଥିଲେ । ୧୯୯୭ ମସିହା ସେପ୍ଟେମ୍ବର ୧୨ତାରିଖରେ ତାଙ୍କର ଦେହାନ୍ତ ହୋଇଥିଲା ।
ବିଶ୍ୱ ଓଜୋନ ଦିବସ ବା ଅନ୍ତଃରାଷ୍ଟ୍ରୀୟ ଓଜୋନ ସ୍ତର ସଂରକ୍ଷଣ ଦିବସ ସାରା ବିଶ୍ୱରେ ପ୍ରତିବର୍ଷ ୧୬ ସେପ୍ଟେମ୍ବର ଦିନ ପାଳିତ ହୁଏ । ୧୯୯୪ ମସିହାରୁ ପାଳିତ ହୋଇ ଆସୁଥିବା ଏହି ଦିବସର ମୂଳ ଉଦ୍ଦେଶ୍ୟ ହେଲା ବାୟୁ ମଣ୍ଡଳକୁ ଘେରି ରହିଥିବା ଓଜୋନ ସ୍ତରର ସଂରକ୍ଷଣ କରିବା ସହ ଓଜନ ସ୍ତର କ୍ଷୀଣ ହେବା ଜନିତ ସୃଷ୍ଟ ଭୟାବହତା ସଂପର୍କରେ ବିଶ୍ୱବାସୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଇବା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅଭିଜିତ ମଜୁମଦାର (ଜନ୍ମ : ୧୧ ସେପ୍ଟେମ୍ବର ୧୯୭୧) ଜଣେ ଓଡ଼ିଆ କଥାଚିତ୍ର ସଙ୍ଗୀତ ନିର୍ଦ୍ଦେଶକ ଓ ଗାୟକ । ୨୦୦୦ ମସିହାରେ ସେ ଓଡ଼ିଆ କଥାଚିତ୍ର ଜଗତରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ଆରମ୍ଭ କରିଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଆଧୁନିକ ଆଲବମ୍, ଭଜନ, ସମ୍ବଲପୁରୀ ଆଲବମ୍, ଓଡ଼ିଆ ଧାରାବାହିକ ଆଦିର ଗୀତ ନିର୍ମାଣ କରନ୍ତି । ୧୯୯୧ ମସିହାରେ ଅଭିଜିତ ପ୍ରଥମ କରି ସଙ୍ଗୀତ ଜଗତରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ତାଙ୍କ ନିର୍ଦ୍ଦେଶିତ ପ୍ରଥମ ସମ୍ବଲପୁରୀ ଆଲବମ୍ ଥିଲା ଦକ୍ସି ଗଲା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ପ୍ରଦୂଷଣ ହେଉଛି ପ୍ରାକୃତିକ ପରିବେଶରେ ପ୍ରଦୂଷକ ପଦାର୍ଥର ପରିଚୟ, ଯାହା ସ୍ୱାଭାବିକ ପ୍ରକୃତିରେ ପ୍ରତିକୂଳ ପରିବର୍ତ୍ତନ ଆଣିଥାଏ । ପ୍ରଦୂଷଣ ରାସାୟନିକ ପଦାର୍ଥ ବା ଶକ୍ତିର ରୂପ ନେଇପାରେ, ଯେପରିକି ଶବ୍ଦ, ଉତ୍ତାପ କିମ୍ବା ଆଲୋକ । ପ୍ରଦୂଷଣ, ପ୍ରଦୂଷଣର ଉପାଦାନ, ବିଦେଶୀ ପଦାର୍ଥ/ଶକ୍ତି କିମ୍ବା ପ୍ରାକୃତିକ ଭାବରେ ଘଟୁଥିବା ପ୍ରଦୂଷକ ହୋଇପାରେ । ପ୍ରଦୂଷଣ ପ୍ରାୟତଃ ଏକ ନିର୍ଦ୍ଧିଷ୍ଟ ଉତ୍ସ କିମ୍ବା ବହୁ ଉତ୍ସଜନିତ ପ୍ରଦୂଷଣ ଭାବରେ ଶ୍ରେଣୀଭୁକ୍ତ ହୋଇଥାଏ । ୨୦୧୫ରେ, ପ୍ରଦୂଷଣରେ ବିଶ୍ୱରେ ୯ ନିୟୁତ ଲୋକ ପ୍ରାଣ ହରାଇଥିଲେ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ପ୍ରଫୁଲ୍ଲ କୁମାର ମଲ୍ଲିକ (ଜନ୍ମ: ୮ ମାର୍ଚ୍ଚ ୧୯୪୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ଚାରିଥର କାର୍ଯ୍ୟ କରିଛନ୍ତି । ବ୍ରହ୍ମାନନ୍ଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି । ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ କାମାକ୍ଷାନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଦୂତୀ ବାହନ ଓଷା (ଦୁତିଆ ଓଷା, ଦୂତୀଆ ଓଷା, ପୁଅ ଜିଉଁତିଆ ଓଷା, ଦୁତିବାମନ ଓଷା ବା ଜୀମୂତବାହନ ଉପବାସ ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ଓଷା । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା "ପୁଅ ଜିଉଁତିଆ" ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ "ଦୁତିଆ/ଦୂତୀଆ" ବା "ଦୂତୀ ବାହନ ଓଷା" ନାମରେ ପାଳିତ । ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରିଥାନ୍ତି । ଏହା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳିତ ହୋଇଥାଏ । ଏହି ଦିନ ମା'ମାନେ ସାରାଦିନ ଜଳସ୍ପର୍ଶ ନ କରି ଉପବାସ କରିଥାନ୍ତି । କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
କବାଡି ଭାରତର ବିଭିନ୍ନ ଅଞ୍ଚଳରେ ଖେଳା ଯାଉଥିବା ଏକ ଲୋକପ୍ରିୟ ଖେଳ । ଏହା ସର୍ବପ୍ରଥମେ ଭାରତରୁ ଆରମ୍ଭ ହୋଇଥିବାର ନଜିର ରହିଛି । ଭାରତରେ ବିଭିନ୍ନ ପର୍ବ ପାଳନ ଅବସରରେ ତଥା ଅନ୍ୟ ସମୟରେ ଆମୋଦ ପାଇଁ ମଧ୍ୟ ଖେଳା ଯାଇଥାଏ । ଭାରତ ଛଡା ବିଭିନ୍ନ ସ୍ଥାନରେ ଏହି ଖେଳକୁ ଭିନ୍ନ ଭିନ୍ନ ଆଞ୍ଚଳିକ ନାମରେ ଲୋକମାନେ ଜାଣନ୍ତି । ବଙ୍ଗଳାଦେଶରେ ଏହି ଖେଳକୁ ହୁହୁଡୁ , ମାଳଦ୍ୱୀପରେ ଏହାକୁ ବାନାଟି , ଆନ୍ଧ୍ରପ୍ରଦେଶରେ ଏହାକୁ ଚୀଡୁଗୁଡୁ , ତାମିଲନାଡୁରେ ସାଡୁଗୁଡୁ ଆଦି ନାମରେ ଜଣାଯାଇଥାଏ । ଏହି ଖେଳଟି ବଙ୍ଗଳାଦେଶରେ ଜାତୀୟ ଖେଳ ଭାବରେ ଆଦୃତ ହୋଇଛି । ଏହାକୁ ଅଧିକ ଲୋକପ୍ରିୟ କରିବା ପାଇଁ ଏବେ ଭାରତରେ ଜାତୀୟ ସ୍ତରରେ ପ୍ରୋ କବାଡି ଲିଗ(Pro Kabaddi League) ଆୟୋଜନ କରାଯାଉଛି । ଯଦିଓ ଏହାର ନାମର ଉତ୍ପତ୍ତିକୁ ନେଇ ସେପରି କିଛି ନିର୍ଦ୍ଧିଷ୍ଟ ପ୍ରମାଣ ଆଜିଯାଏଁ ମିଳି ପାରିନାହିଁ , ତଥାପି ଉତ୍ତର ଭାରତରୁ ଏହାର ଉତ୍ପତ୍ତି ବିଷୟରେ ସୂଚନା ମିଳେ । ତାମିଲ ଶବ୍ଦ "କାଭିଡି"(ତାମିଲ ଅର୍ଥ ଅଧା ନଇଁ କରି ଖେଳିବାକୁ ବୁଝାଏ) କିମ୍ବା "କାଇ-ପିଡି"(ହାତକୁ ହାତ ଧରିକରି ଖେଳିବାକୁ ବୁଝାଏ )ରୁ "କବାଡି'" ଶବ୍ଦ ଆସିଥିବା ଅନୁମାନ କରାଯାଏ ।
ଚାଖି ଖୁଣ୍ଟିଆ (ଅନ୍ୟ ନାମ: ଚନ୍ଦନ ହଜୁରୀ, ୧୮୨୭ - ୧୮୭୦) ଓଡ଼ିଶାର ଜନ୍ମିତ ଓ ସିପାହୀ ବିଦ୍ରୋହରେ ନେତୃତ୍ତ୍ୱ ନେଇଥିବା ଜଣେ ଯୋଦ୍ଧା । ସେ ପୁରୀ ଜଗନ୍ନାଥ ମନ୍ଦିରକୁ ଆସୁଥିବା ନେପାଳୀ ଭକ୍ତମାନଙ୍କର ପଣ୍ଡା ଥିଲେ । ୧୮୫୭ ମସିହାରେ ସିପାହୀ ବିଦ୍ରୋହ ବେଳେ ସେ ଉତ୍ତର-ପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରିଥିଲେ । ପରେ ସେ ଧରାପଡ଼ି ବ୍ରିଟିଶମାନଙ୍କଦ୍ୱାରା ନିହତ ହୋଇଥିଲେ ।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ମହାଳୟା (ଇଂରାଜୀ: Mahalaya, ମହାଳୟା ଅମାବାସ୍ୟା ନାମରେ ମଧ୍ୟ ଜଣା) ଭାରତର ରାଜ୍ୟ ଓଡ଼ିିିଶାର ଏକ ଧର୍ମଭିତ୍ତିକ ପର୍ବ । ଏହା ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ '''ମହାଳୟା ଶ୍ରାଦ୍ଧ''', '''ସାମ୍ବତ୍ସରିକ ଶ୍ରାଦ୍ଧ''' ବା '''ପାର୍ବଣ ଶ୍ରାଦ୍ଧ''' ବା '''ମଉଳା ଶ୍ରାଦ୍ଧ''' କୁହାଯାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଜନ ଫିଜ୍ଗେରାଲ୍ଡ କେନେଡ଼ି ବା ଜ୍ୟାକ୍ କେନେଡ଼ି (୨୯ ମେ, ୧୯୧୭ - ୨୨ ନଭେମ୍ବର ୧୯୬୩) ଜଣେ ଆମେରିକୀୟ ରାଜନେତା (JFK ନାଁରେ ଅଧିକ ପ୍ରସିଦ୍ଧ) । ସେ ଜାନୁଆରୀ ୧୯୬୧ରୁ ନଭେମ୍ବର ୧୯୬୩ରେ ତାଙ୍କ ହତ୍ୟା ଯାଏଁ ଯୁକ୍ତରାଷ୍ଟ୍ର ଆମେରିକାର ୩୫ତମ ରାଷ୍ଟ୍ରପତିର ଦାୟିତ୍ୱ ବହନ କରିଥିଲେ । ତାଙ୍କ ଶାସନ କାଳରେ ବିଶ୍ୱ ରାଜନୀତିର ଅନେକ ପ୍ରମୁଖ ଓ ଐତିହାସିକ ଘଟଣା ଘଟିଯାଇଥିଲା ଯଥା: ପରମାଣୁ ପରୀକ୍ଷଣ ପ୍ରତିବନ୍ଧ ସନ୍ଧି (Nuclear Test Ban Treaty), ପିସ୍ କର୍ପର ପ୍ରତିଷ୍ଠା, ମହାକାଶ ଯାତ୍ରା ଲାଗି ପ୍ରତିଯୋଗିତା, ବର୍ଲିନ ପ୍ରାଚୀର ନିର୍ମାଣ, କୃଷ୍ଣକାୟଙ୍କ ନାଗରିକ ଅଧିକାର ଆନ୍ଦୋଳନ ଓ ଭିଏତନାମ ଯୁଦ୍ଧରେ ଆମେରିକାର ପୂର୍ଣ୍ଣ ଯୋଗଦାନ ଆଦି ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମାନସିକ କଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଶ୍ରୀମନ୍ଦିର ବେଢା ମଧ୍ୟରେ ଦେବୀ ଶୀତଳା ଓ ବାହନ ସିଂହଙ୍କ ମଧ୍ୟରେ ପ୍ରାଚୀନ ସୁନାକୂଅ ଅବସ୍ଥିତ । ଏହାକୁ ଅନେକ ପ୍ରଣୀତ କୂଅ ବୋଲି କୁହନ୍ତି । ଏହିକୂଅର ରକ୍ଷକ ହେଉଛନ୍ତି ମା’ଶୀତଳା । ଦେବ ସ୍ନାନ ପୂର୍ଣ୍ଣିମା ଦିନ ଠାକୁରମାନଙ୍କୁ ସ୍ନାନମଣ୍ଡପରେ ବସାଇ ୧୦୮ କଳସରେ ସ୍ନାନ କରିବାର ବିଧି ଅଛି । ସ୍ନାନପୂର୍ଣ୍ଣିମା ପୂର୍ବଦିନ ସୁନାକୂଅରୁ ପବିତ୍ର ଜଳ ଅଣାଯାଏ । ସିଂହଦ୍ୱାର ପ୍ରବେଶପଥର ଦକ୍ଷିଣ ପଟ ବେଢା ମଧ୍ୟରେ ବିରାଜିତ ପାତାଳ ସମ୍ଭୂତା ମା’ଶୀତଳାଙ୍କର କେବଳ ମସ୍ତକଟି ଦେଖାଯାଏ । କଳିଯୁଗ ଶେଷରେ ଦେବୀ ସଂପୂର୍ଣ୍ଣ ଆବିର୍ଭାବ ହେବେ ବୋଲି ଜନଶ୍ରୁତି ରହିଛି । ବର୍ଷକରେ ଥରୁଟିଏ ମାତ୍ର ସ୍ନାନପୂର୍ଣ୍ଣିମା ପୂର୍ବଦିନ ସୁନାକୂଅର ଅଭ୍ୟନ୍ତର ପରିଷ୍କାର କରାଯାଇ ଜଳ ଅଭିମନ୍ତ୍ରୀତ ହୋଇ ୧୦୮କଳସରେ ଜଳ ଅଣାଯାଏ । ଏହିଜଳକୁ କେବଳ ସୁନାଗୋସେଇଁ , ମୁଦିରସ୍ତ ଓ ଗରାବଡୁ ସେବକମାନେ ଆଣିଥାନ୍ତି । ଜଳ ଆଣିସାରିବା ପରେ ପୁନର୍ବାର କୂଅକୁ ଘୋଡାଇ ଦିଆଯାଏ । ବର୍ଷେ ପର୍ଯ୍ୟନ୍ତ ଆଉ ସେ କୂଅର ଜଳ ବ୍ୟବହାର କରାଯାଏ ନାହିଁ । ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଠାକୁରଙ୍କ ଜନ୍ମଦିନ । ତେଣୁ ମହାରାଜା ଇନ୍ଦ୍ରଦ୍ୟୁମ୍ନ ଏହି ସ୍ନାନପୂର୍ଣ୍ଣିମା ଦିନ ସୁନାକୂଅରୁ ୧୦୮କଳସ ଜଳ ଆଣି ଠାକୁରଙ୍କୁ ସ୍ନାନ କରାଇଥିଲେ । ସୃଷ୍ଟିରେ ଯେତେ ତୀର୍ଥଜଳ ଅଛି ସମସ୍ତ ତୀର୍ଥଜଳ ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ଏହି ସୁନାକୂଅକୁ ଆସିଥାନ୍ତି । ଜଗତର ଠାକୁର ଶ୍ରୀଜଗନ୍ନାଥଙ୍କର ସ୍ନାନପରେ ସବୁତୀର୍ଥଜଳ ସେ ସୁନାକୂଅରୁ ଅନ୍ତର୍ଦ୍ଧାନ ହୋଇଯାଇଥାନ୍ତି । ତେଣୁ ସେ କୂଅରୁ ଆଉ ଜଳ ବ୍ୟବହୃତ ହୋଇନଥାଏ । ବର୍ଷକ ପରେ ସ୍ନାନପୂର୍ଣ୍ଣିମାକୁ ସେ କୂଅରୁ ଜଳ ଆସେ । ଏହା ହେଉଛି ଶ୍ରୀମନ୍ଦିର ସୁନାକୂଅର ବିଶେଷତ୍ୱ ।
ଲୋକରତ୍ନ କୁଞ୍ଜବିହାରୀ ଦାଶ, (୭ ମାର୍ଚ୍ଚ ୧୯୧୪ - ୧୪ ମାର୍ଚ୍ଚ ୧୯୯୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଅଧ୍ୟାପକ, ଲେଖକ ଓ ଗବେଷକ ଥିଲେ । ତାଙ୍କର ଆମେରିକାରୁ ୟୁରୋପ୍ ଆଫ୍ରିକା ପୁସ୍ତକ ପାଇଁ ସେ ୧୯୬୫-୬୭ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ମୋ କାହାଣୀ ପାଇଁ ୧୯୭୯ କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର ପାଇଥିଲେ । କଲିକତା ଏକାଡେମୀ ଅଫ୍ ଫୋକଲୋର ତାଙ୍କୁ ୧୯୭୮ ମସିହାରେ "ଲୋକରତ୍ନ" ଉପାଧି ପ୍ରଦାନ କରିଥିଲା । ଜଣେ ସାରସ୍ୱତ ସଂଗଠକ ଭାବରେ ସେ ବହୁ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ଥିଲେ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।