ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ନବରାତ୍ରୀ ଏକ ହିନ୍ଦୁ ପର୍ବ ଓ ଏହା ନଅ ରାତି (ଏବଂ ଦଶ ଦିନ) ଧରି ପ୍ରତିବର୍ଷ ଶରତ ଋତୁରେ ପାଳନ କରାଯାଇଥାଏ । ଏହା ବିଭିନ୍ନ କାରଣରୁ ଏବଂ ଭାରତୀୟ ସାଂସ୍କୃତିକ କ୍ଷେତ୍ରର ବିଭିନ୍ନ ଭାଗରେ ଭିନ୍ନ ଭିନ୍ନ ଭାବଏ ପାଳନ କରାଯାଇଥାଏ । ତାତ୍ତ୍ୱିକ ଭାବେ ଚାରୋଟି ଋତୁକାଳୀନ ନବରାତ୍ରୀ ରହିଛି । ତେବେ ସାଧାରଣତଃ ମୌସୁମୀ ପରବର୍ତ୍ତୀ ଶାରଦୀୟ ନବରାତ୍ରୀ ପ୍ରଧାନ । ଏଥିରେ ହିନ୍ଦୁ ଦେବୀଙ୍କୁ (ଦୁର୍ଗା) ସମ୍ମାନ ଜଣାଇ ପାଳନ କରାଯାଏ । ଏହି ପର୍ବ ହିନ୍ଦୁ ପାଞ୍ଜିର ଆଶ୍ୱିନ ମାସର ଶୁକ୍ଳପକ୍ଷରେ ପାଳନ କରାଯାଏ ଓ ଏହା ସାଧାରଣତଃ ଗ୍ରେଗୋରିଆନ ମାସ ସେପ୍ଟେମ୍ବର ଏବଂ ଅକ୍ଟୋବରରେ ପଡ଼ିଥାଏ ।
ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ରି ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହୋଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
୧୯୨୦ ଦଶକରୁ ପ୍ରଜା ମଣ୍ଡଳ ଆନ୍ଦୋଳନ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ଏକ ଅଂଶ ଥିଲା ଯେଉଁଥିରେ ରାଜକୁମାର ରାଜ୍ୟରେ ରହୁଥିବା ଲୋକମାନେ ବ୍ରିଟିଶ ରାଜ ପରିବର୍ତ୍ତେ ସ୍ଥାନୀୟ ଆଭିମୁଖ୍ୟବାଦୀଙ୍କ ଅଧୀନରେ ରହିଥିଲେ ଏବଂ ସେହି ସାମ୍ରାଜ୍ୟବାଦୀ ଶାସକମାନଙ୍କ ବିରୁଦ୍ଧରେ ପ୍ରଚାର କରିଥିଲେ ଏବଂ ବେଳେବେଳେ ବ୍ରିଟିଶମାନେ ମଧ୍ୟ ଏହା କରିଥିଲେ। ସେମାନଙ୍କର ନାଗରିକ ଅଧିକାରର ଉନ୍ନତି ପାଇଁ ପ୍ରୟାସରେ ପ୍ରଶାସନ |
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
୧୯୨୨ ଖ୍ରୀଷ୍ଟାବ୍ଦରେ ସିନ୍ଧୁନଦୀର ଉପତ୍ୟକାରେ ପଶ୍ଚିମ ପଞ୍ଚାବସ୍ଥିତ ମୋଣ୍ଟେଗୋମେରୀ ଜିଲ୍ଲାର ହରପ୍ପାଠାରେ ଗୋଟିଏ ପ୍ରାଚୀନ ନଗରୀର ଧ୍ୱସାବଶେଷ ଆବିଷ୍କାର ଫଳରେ ଭାରତ ଇତିହାସରେ ଏକ ଗୁରୁତ୍ୱପୂଣ୍ଣର୍ ଅଧ୍ୟାଯ ଉନ୍ମୋଚିତ ହୋଇପାରିଛି। ଏହି ନଗରୀଟି ଥିଲା ଏକ ମହନୀୟ ସଭ୍ୟତାର ପୀଠସ୍ଥଳୀ। ଠିକ୍ ସେହିପରି ଏଚ ସଂସ୍କୃତି ମହେଞ୍ଜୋଦାରୋଠାରେ ଆବିଷ୍କୃତ ହୋଇଥିଲା। ଏହି ହରପ୍ପା ସଂସ୍କୃତି ସିନ୍ଧୁ ଓ ସରସ୍ୱତୀ ନଦୀ ଦ୍ୱୟ ମଧ୍ୟରେ ହୋଇଥିଲା।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭଳି ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଦୁର୍ଗାଷ୍ଟମୀ ବା ମହାଷ୍ଟମୀ ଏକ ପବିତ୍ର ଦିବସ ଯାହା ପାଞ୍ଚଦିନିଆ ଦୁର୍ଗା ପୂଜା ଅବସରରେ ମା ଦୂର୍ଗାଙ୍କୁ ଭକ୍ତି ଓ ସମ୍ମାନ ଜଣେଇବାକୁ ପାଳନ କରାଯାଏ । ପରମ୍ପରା ଅନୁସାରେ ପ୍ରତି ହିନ୍ଦୁ ଗୃହରେ ଦୂର୍ଗା ପୂଜା ଦଶ ଦିନ ଧରି ପାଳନ କରିବା କଥା କିନ୍ତୁ ଦୂର୍ଗା ମଣ୍ଡପରେ ଏହା ଷଷ୍ଠୀ (Shashthi) ଦିବସଠାରୁ ପାଞ୍ଚ ଦିନ ପାଳନ କରାଯାଉଛି । ଭାରତରେ ଏହି ଦିନ ଅନେକ ସ୍ଥାନରେ ଲୋକମାନେ ଉପବାସ ପାଳନ କରନ୍ତି । ସୁନ୍ଦର ପୋଷାକ ପିନ୍ଧି ଲୋକମାନେ ଏକତ୍ରିତ ହୋଇ ଗରବା ନୃତ୍ୟ କରନ୍ତି । ଦେବୀଙ୍କର ଅସ୍ତ୍ରସବୁ ଏହି ଦିନ ପୂଜା କରାଯାଉଥିବାରୁ ଏହି ଦିବସକୁ ‘ଅସ୍ତ୍ର ପୂଜା’ ଦିବସ ମଧ୍ୟ କୁହାଯାଏ । ଅନେକ ସ୍ଥାନରେ ଅସ୍ତ୍ର ବ୍ୟବହାର କରି ମାର୍ଶାଲ କଳା ପ୍ରଦର୍ଶନ କରୁଥିବାରୁ ଏହି ଦିବସକୁ ବୀର ଅଷ୍ଟମୀ ମଧ୍ୟ କୁହାଯାଏ ।
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ସଂକ୍ଷେପରେ "ଆରଏସଏସ") ଏକ ଭାରତୀୟ ଦକ୍ଷିଣପନ୍ଥୀ, ହିନ୍ଦୁ ଜାତୀୟତାବାଦୀ, ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ । ଆରଏସଏସ ହେଉଛି ସଂଘ ପରିବାରର ନାମକ ଏକ ବୃହତ ସଂସ୍ଥାସମୂହର ମୂଳ ସଂଗଠନ ଏବଂ ତାହା ଭାରତୀୟ ସମାଜର ସମସ୍ତ ଦିଗରେ ଉପସ୍ଥିତି ରହିଛି । ଆରଏସଏସ ୧୯୨୫ ସେପ୍ଟେମ୍ବର ୨୭ରେ ସ୍ଥାପିତ ହୋଇଥିଲା । ୨୦୧୪ ବେଳକୁ ଏହାର ସଦସ୍ୟତା ଥିଲା ୫୦-୬୦ ଲକ୍ଷ (୫-୬ ନିୟୁତ) ।
ଦୁର୍ଗମଛେଦିନୀ, ଦୁର୍ଗତିନାଶିନୀ, ଶକ୍ତି ସ୍ୱରୂପିଣୀ, ତ୍ରିଶୂଳଧାରିଣୀ, ବଳଦାୟିନୀ, ମହିଷମର୍ଦ୍ଦିନୀ, ଚଣ୍ଡମୁଣ୍ଡ ବିନାଶିନୀ ମା’ ଦୁର୍ଗା ହେଉଛନ୍ତି ସମସ୍ତ ଶକ୍ତିର ଅଧିଷ୍ଠାତ୍ରୀ ଦେବୀ । ମା’ ଦୁର୍ଗା ହେଉଛନ୍ତି ମୋକ୍ଷଦାତ୍ରୀ, ମଙ୍ଗଳମୟୀ । ମା’ ଦୁର୍ଗାଙ୍କୁ ଉପାସନା କଲେ ମଣିଷ ଧର୍ମ – ଅର୍ଥ – କାମ – ମୋକ୍ଷ ଚତୁର୍ବର୍ଗର ଫଳପ୍ରାପ୍ତି କରିଥାଏ । ଦୁର୍ଗାସାଧନାର ପ୍ରାପ୍ତିଫଳ ଅସୀମ ଏବଂ ଅନନ୍ତ । ଏକଦା ଦେବତାମାନେ ମାତାଦୁର୍ଗାଙ୍କୁ ଷୋଡଶ ଉପଚାରରେ ପୂଜା କଲେ । ଦେବତାମାନଙ୍କ ପୂଜାରେ ସନ୍ତୁଷ୍ଟ ହୋଇ ଦୁର୍ଗତିନାଶିନୀ ଦୁର୍ଗା କହିଲେ – “ ହେ ଦେବଗଣ, ମୁଁ ତୁମ୍ଭମାନଙ୍କ ପୂଜାରେ ସନ୍ତୁଷ୍ଟ । ମୁଁ ତୁମ୍ଭମାନଙ୍କୁ ଏକ ଦୁର୍ଲଭବସ୍ତୁ ପ୍ରଦାନ କରିବି “ । ଦୁର୍ଗାଙ୍କ କଥା ଶୁଣି ଦେବତାମାନେ କହିଲେ – “ ହେ ମା’ ଦୁର୍ଗା ଆପଣ ଆମ୍ଭମାନଙ୍କର ଶତ୍ରୁ ମହିଷାସୁର, ଚଣ୍ଡମଣ୍ଡ ଓ ଶୁମ୍ଭନିଶୁମ୍ଭ ଆଦି ଦାନବମାନଙ୍କୁ ସଂହାର କରିଛନ୍ତି । ଆପଣ ଭକ୍ତମାନଙ୍କ ପାଇଁ କଳ୍ପବୃକ୍ଷ ଅଟନ୍ତି । ଆମ୍ଭେମାନେ ଆପଣଙ୍କର ଶରଣାପନ୍ନ । ଆପଣ ସଂକଟରେ ପଡ଼ିଥିବା ଭକ୍ତମାନଙ୍କୁ କିପରି ରକ୍ଷା କରନ୍ତି ସେହି କଥା ଆମ୍ଭ ନିକଟରେ ପ୍ରକାଶ କରନ୍ତୁ । ଦେବତାମାନଙ୍କର ପ୍ରାର୍ଥନା ଶୁଣି ଦୁର୍ଗାଦେବୀ କହିଲେ – ହେ ଦେବଗଣ, ମୁଁ ଯେଉଁ କଥା ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଛି ତହ ଅତ୍ୟନ୍ତ ଦୁର୍ଲଭ ଅଟେ । ମୋର ବତିଶିଟି ନାମମାଳା ସମସ୍ତ ବିପଦକୁ ବିନାଶ କରି ଭକ୍ତର ସଂକଟମୋଚନ କରିଥାଏ । ତ୍ରିଭୁବନରେ ଏପରି ଦୁର୍ଲଭ ସ୍ତୁତି କିଛି ନାହିଁ । ଏହା ଖୁବ୍ ଗୋପନୀୟ । ଏହିସ୍ତୁତି ମନଦେଇ ଶ୍ରବଣ କର । ଏହି ସ୍ତୁତିଟି ହେଲା –
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଭାରତର ସ୍ୱାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |
ହାତୀ (ଇଂରାଜୀରେ Elephant) ଏକ ବୃହତାକାର ସ୍ତନ୍ୟପାୟୀ ପ୍ରାଣୀ ଓ ଏହା ସର୍ବବୃହତ୍ ସ୍ଥଳଚର ସ୍ଥନ୍ୟପାୟୀ ଜୀବ । ଜୀବବିଜ୍ଞାନ ଅନୁଯାୟୀ ହାତୀକୁ ଏଲିଫେଣ୍ଟିଡାଏ ପରିବାରରେ ସ୍ଥାନିତ କରାଯାଇଛି । ହାତୀଙ୍କର ତିନୋଟି ଉପ-ପ୍ରଜାତି ଚିହ୍ନଟ କରାଯାଇଛି । ସେଗୁଡ଼ିକ ହେଲେ – ଆଫ୍ରିକୀୟ ବୁଦା ହାତୀ (African bush elephant, ଜୀବବିଜ୍ଞାନ ନାମ Loxodonta africana), ଆଫ୍ରିକୀୟ ଜଙ୍ଗଲ ହାତୀ (African forest elephant, ଜୀବବିଜ୍ଞାନ ନାମ Loxodonta cyclotis) ଏବଂ ଏସୀୟ ହାତୀ (Asian elephant, ଜୀବବିଜ୍ଞାନ ନାମ Elephas maximus) । ଭୌଗୋଳିକ ବିତରଣ ଦୃଷ୍ଟିରୁ ଉପ-ସାହାରା ଆଫ୍ରିକା, ଦକ୍ଷିଣ ଏବଂ ଦକ୍ଷିଣ-ପୂର୍ବ ଏସିଆରେ ହାତୀମାନେ ବ୍ୟାପ୍ତ । ପ୍ରାଚୀନ କାଳର ପ୍ରୋବୋଶିଡିଆ (proboscis-ପ୍ରୋବୋଶିସ୍ ଶବ୍ଦର ଅର୍ଥ ଶୁଣ୍ଢ) ପରିବାରରୁ କେବଳ ଏଲିଫେଣ୍ଟିଡାଏ ପରିବାର ବର୍ତ୍ତମାନ ଜୀବିତ ରହିଛି; କିନ୍ତୁ ଅନ୍ୟ ପରିବାର ଯଥା ଡାଏନୋଥେରିସ୍, ଗୋମ୍ଫୋଥିଅର୍, ମାମ୍ମଥ୍ ଓ ମାଷ୍ଟୋଡନ୍ ଇତ୍ୟାଦିର ଜୀବସମୂହ ଲୋପ ପାଇଗଲେଣି ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲାହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ବର୍ଷା ସିଂହ ବରିହା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୨ ମସିହାରେ ପଦ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସେ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚରେ, ସେ ପଦ୍ମପୁରରୁ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭାରତୀୟ ଜାତୀୟ କ୍ରିକେଟ ଅଧିନାୟକ ସମୂହଙ୍କ ତାଲିକା
ଏହା ଭାରତୀୟ ଜାତୀୟ କ୍ରିକେଟ ଅଧିନାୟକମାନଙ୍କ ଏକ ତାଲିକା । ଏଥିରେ ଭାରତୀୟ ପୁରୁଷ , ମହିଳା ଓ ଯୁବ ଦଳର ଟେଷ୍ଟ । ଏକଦିବଶୀୟ ଅନ୍ତର୍ଜାତିକ , ଓ ଟି20 ଅନ୍ତର୍ଜାତିକ ଦଳର ଅଧିନାୟକ ମାନଙ୍କ ନାମ ରହିଛି । "ବ୍ରିଟିଶ ଭାରତ" ରାଜକୀୟ କ୍ରିକେଟ କାଉନ୍ସିଲ ( ଯାହା ବର୍ତ୍ତମାନ ଅନ୍ତର୍ଜାତିକ କ୍ରିକେଟ କାଉନସିଲ , ICC ନାମରେ ପରିଚିତ )ର ପୂର୍ଣ ସଦସ୍ୟତା 1926 ମସିହା 31 , ମେରେ ହାସଲ କରିବା ପରେ 1932 ଜୁନ 25 ତାରିଖରେ ଷଷ୍ଠ ଟେଷ୍ଟ ମାନ୍ୟତା- ପ୍ରାପ୍ତ ଦେଶ ଭାବରେ ଇଂଲଣ୍ଡ , ଅଷ୍ଟ୍ରେଲିଆ , ୱେଷ୍ଟ ଇଣ୍ଡିଜ , ଦକ୍ଷିଣ ଆଫ୍ରିକା ଓ ନିଉଜିଲାଣ୍ଡ ସହ ସାମିଲ ହେଇଥିଲା ।ଦ୍ୱିତୀୟ ବିଶ୍ୱ ଯୁଦ୍ଧର ଅବ୍ୟବହିତ ପୂର୍ବରୁ ଭାରତ ମାତ୍ର 7ଟି ଟେଷ୍ଟ ଖେଳିଥିଲା ଓ ସମସ୍ତ କେବଳ ଇଂଲଣ୍ଡ ବିପକ୍ଷରେ ଥିଲା । ଏହା ମଧ୍ୟରୁ ଭାରତ 5ଟି ରେ ପରାଜୟ ବରଣ କରିଥିବା ବେଳେ 2 ଟିକୁ ଅମୀମାଂଶିତ ରଖିବାରେ ସଫଳ ହେଇଥିଲା । ଅନ୍ୟ ଦେଶ ବିରୁଦ୍ଧରେ ଭାରତ ପ୍ରଥମେ ଡନ ବ୍ରାଡମେନଙ୍କ ତତ୍ପ କାଳୀନ ଅପରାଜେୟ କୁହାଯାଉଥିବା ଅଷ୍ଟ୍ରେଲିଆ ଦଳ ସହ ପ୍ରଥମ କରି 1947-48 ମସିହାରେ ଖେଳିଥିଲା ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଆର୍ଯ୍ୟାବର୍ତ୍ତ ଭାରତ ବର୍ଷର ପ୍ରତ୍ୟେକ ଭାରତୀୟ ଚତୁର୍ଦ୍ଧାମ ରାମେଶ୍ୱର, ପୁରୀ, ବଦ୍ରୀନାଥ ଓ ଦ୍ୱାରକା ଦର୍ଶନର କାମନା କରିଥାନ୍ତି । ଚାରୋଟି ସ୍ଥାନ – ଚାରିଧାମ ପରମ ପବିତ୍ର । ଏଥିମଧ୍ୟରୁ ତିନୋଟି ଧାମ ପୁରୀ, ରାମେଶ୍ୱର ଏବଂ ଦ୍ୱାରକା ସାଗର କୂଳରେ ଓ ବଦ୍ରୀନାଥ ଧାମ ହିମାଳୟ ପର୍ବତରେ ଅବସ୍ଥିତ । କଥିତ ଅଛି ଯେ ମନୁଷ୍ୟ ପରି ଭଗବାନ ମଧ୍ୟ ରାମେଶ୍ୱରରେ ସ୍ନାନ କରି ଆଭୂଷଣ ବିମଣ୍ଡିତ ହୁଅନ୍ତି ଦ୍ୱାରକାରେ, ଶ୍ରୀକ୍ଷେତ୍ରରେ ଷାଠିଏ ପଉଟି ଭୋଜନ କରି ବଦ୍ରିକାର ନିଶ୍ଚଳ ଅଞ୍ଚଳରେ ସୁଖ ନିଦ୍ରା ଯାଇଥାନ୍ତି । କାର୍ତ୍ତିକଠାରୁ ବୈଶାଖ ଅକ୍ଷୟ ତୃତୀୟା ପର୍ଯ୍ୟନ୍ତ ଛଅମାସ କାଳ ବଦ୍ରୀନାଥ ମନ୍ଦିର ଦ୍ୱାର ବନ୍ଦ ରହେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଟାଇଫଏଡ ଜ୍ୱର ବା ଟାଇଫଏଡ ବା ଆନ୍ତ୍ରିକ ଜ୍ୱର ବା ଅନ୍ତ୍ର ଜ୍ୱର ଭାବରେ ପରିଚିତ, (ଇଂରାଜୀରେ Typhoid fever, ବା typhoid), ସାଲମୋନେଲା ଟାଇଫି ନାମକ ଜୀବାଣୁ ସଂକ୍ରମଣଦ୍ୱାରା ହୁଏ । ଏହି ରୋଗ ଅନ୍ୟ ରୋଗୀ ସଂସ୍ପର୍ଶର ଆସିବାର ୬ରୁ ୩୦ ଦିନ ପରେ ଆରମ୍ଭ ହୁଏ ଓ ମଧ୍ୟମ ବା ଗମ୍ଭୀର ଧରଣର ହୋଇପାରେ । ଏହି ଜ୍ୱର କିଛି ଦିନ ଧରି ହୁଏ ଓ ଧୀରେ ଧୀରେ ବଢ଼ିଚାଲେ । ଏହି ରୋଗରେ ସାଧାରଣତଃ ଦୁର୍ବଳ ଲାଗେ, ପେଟରେ କଷ୍ଟ ହୁଏ, କୋଷ୍ଠକାଠିନ୍ୟ ଓ ମୁଣ୍ଡବଥା ହୁଏ । ତରଳ ଝାଡ଼ା ଓ ବାନ୍ତି ସାଧାରଣତଃ ହୁଏ । କେତେକ ଲୋକଙ୍କର ଚର୍ମରେ ଗୋଲାପୀ ରାସ ଦେଖାଯାଏ । ରୋଗ ଗମ୍ଭୀର ହେଲେ ବିଚଳିତ ହେବା ଦେଖାଯାଏ । ଚିକିତ୍ସିତ ନ ହେଲେ ସପ୍ତାହ ସପ୍ତାହ ଓ ମାସ ମାସ ଧରି ରୋଗ ଲାଗିରହେ । କେତେକ ଲୋକ ଦେହରେ ଜୀବାଣୁ ଥାଏ କିନ୍ତୁ ସେମାନଙ୍କୁ ରୋଗ ହୁଏ ନାହିଁ; ସେମାନଙ୍କୁ କ୍ୟାରିଅର କୁହାଯାଏ ଓ ତାଙ୍କର ଅନ୍ୟକୁ ସଂକ୍ରମିତ କରିବା ଶକ୍ତି ଥାଏ । ପାରାଟାଇଫଏଡ ଜ୍ୱର ଭଳି ଟାଇଫଏଡ ଜ୍ୱର ଏକ ପ୍ରକାର ଆନ୍ତ୍ରିକ ଜ୍ୱର ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।