ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-""ଅଇଲା ଚିତୋଉ ନାନୀ/ ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ/ ସବୁ ଓଷା ବାର ଏଇଠି ଥାଉ ।"
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପ୍ୟୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ୱୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ଗୋପୀନାଥ ନନ୍ଦ ( ୨୧ ଅଗଷ୍ଟ ୧୮୬୯ - ୧୨ ଜାନୁଆରୀ ୧୯୨୪), ଗୋପୀନାଥ ନନ୍ଦ ଶର୍ମା ନାମରେ ମଧ୍ୟ ପରିଚିତ, ଜଣେ ଓଡ଼ିଆ ଭାଷା-ତତ୍ତ୍ୱବିଦ୍, ଅଭିଧାନ ସଂକଳକ, ନାଟ୍ୟକାର ଓ ଲେଖକ ଥିଲେ । ସେ ଥିଲେ ୧୯୧୬ ମସିହାରେ ପ୍ରକାଶିତ ଶବ୍ଦତତ୍ତ୍ୱବୋଧ ଅଭିଧାନର ସଂକଳକ ଥିଲେ । ତାଙ୍କର ଏହି ଅବଦାନ ନିମନ୍ତେ ସେ କାଇଜର-ଇ-ହିନ୍ଦ ଉପାଧି ପାଇଥିଲେ ଓ "ଓଡ଼ିଶାର ପାଣିନୀ" ନାମରେ ସୁପରିଚିତ ଥିଲେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ସାବିତ୍ରିବାଈ ଜ୍ୟୋତି ରାଓ ଫୁଲେ (୩ ଜାନୁଆରୀ ୧୮୩୧ - ୧୦ ମାର୍ଚ୍ଚ ୧୮୯୭) ଜଣେ ଭାରତୀୟ ଶିକ୍ଷିକା, ସମାଜ ସୁଧାରିକା ଏବଂ କବୟତ୍ରୀ ଥିଲେ। ବ୍ରିଟିଶ ଶାସନ ସମୟରେ ସେ ତାଙ୍କ ସ୍ୱାମୀ ଜ୍ୟୋତିରାଓ ଗୋବିନ୍ଦରାଓ ଫୁଲେଙ୍କ ସହିତ ମିଶି ନାରୀମାନଙ୍କ ଅଧିକାର ଏବଂ ଶିକ୍ଷା ପାଇଁ କାର୍ଯ୍ୟ କରିଥିଲେ । ସାବିତ୍ରୀବାଈ ଭରତର ପ୍ରଥମ ବାଳିକା ବିଦ୍ୟାଳୟରେ ପ୍ରଥମ ମହିଳା ଶିକ୍ଷୟିତ୍ରୀ ଥିଲେ । ତାଙ୍କୁ ଲୋକେ ଆଧୁନିକ ମରାଠୀ କାବ୍ୟର ଅଗ୍ରଦୂତ ଭାବେ ମାନନ୍ତି ।
ପୌଷ ପୂର୍ଣ୍ଣିମା କୃଷି ସମ୍ବନ୍ଧିତ ଏକ ସାମାଜିକ ପର୍ବ, ବ୍ରତ ବା ଓଷାପୂଜାର ଉପାଖ୍ୟାନ ଏହା ସହ ଜଡ଼ିତ ନଥାଏ । ପ୍ରଥମ ପାଚିଲା ଧାନକୁ ନେଇ ଓଡ଼ିଶାରେ ନୂଆଁଖାଇ ପାଳିତ ହେଲା ପରି ଫସଲ ଅମଳ ହେବା ପରେ ପୌଷ ମାସର ପୂର୍ଣ୍ଣିମାକୁ ପୁଷ୍ପୁନି ବା ଛେର୍ଛେରା ଭାବେ ଓଡ଼ିଶାର ପଶ୍ଚିମାଞ୍ଚଳରେ ଏକ ଗଣପର୍ବ ରୂପେ ପାଳନ କରାଯାଏ । ପୂର୍ଣ୍ଣମୀ ରାତିସାରା ପଶ୍ଚିମ ଓଡ଼ିଶାର ଗାଁମାନଙ୍କରେ ନୃତ୍ୟ-ଗୀତର ଆସର ଜମିଥାଏ । ଏପ୍ରକାର ଆନନ୍ଦ ଉଲ୍ଲାସରେ ଆବାଳ ବୃଦ୍ଧବନିତା ଅଂଶୀଦାର ଥାଆନ୍ତି ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ମୋହନ ସୁନ୍ଦର ଦେବ ଗୋସ୍ୱାମୀ (୧୮୯୨-୧୯୪୮) ଜଣେ ଓଡ଼ିଆ କବି, ଗାୟକ, ନାଟ୍ୟକାର, କଥାଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ଥିଲେ । ବିଂଶ ଶତାବ୍ଦୀରେ ଉତ୍କଳୀୟ ରାହାସର ସେ ଜଣେ ପ୍ରଧାନ ପ୍ରବର୍ତ୍ତକ ଓ ପ୍ରଚାରକ ଥିଲେ । ନିଜ କବିତ୍ୱ, ମଧୁର କଣ୍ଠ, ଅଭିନୟ ଓ ଶିକ୍ଷାଦ୍ୱାରା ସେ ରାସଦଳ ଗଢ଼ି ରାଧାକୃଷ୍ଣଙ୍କ ଲୀଳା ଅଭିନୀତ କରାଉଥିଲେ । ସେହି ସମୟରେ ଓଡ଼ିଶାର ଗ୍ରାମେ ଗ୍ରାମେ 'ମୋହନ ଗୋସେଇଁ' ନାମରେ ସୁପରିଚିତ ଥିଲେ ।
ଶକୁନି (ସଂସ୍କୃତ: शकुनि) ବା ଗାନ୍ଧାର ନରେଶ (ସଂସ୍କୃତ: गान्धारराज, ଗାନ୍ଧାରାର ରାଜା) ହିନ୍ଦୁ ମହାକାବ୍ୟ ମହାଭାରତର ଏକ ପ୍ରମୁଖ ଚରିତ୍ର । ଗାନ୍ଧର ରାଜ୍ୟର ଏହି ରାଜକୁମାର, ପରେ ପିତାଙ୍କ ମୃତ୍ୟୁ ପରେ ସେ ଗନ୍ଧାର ରାଜ୍ୟର ରାଜା ହୋଇଥିଲେ । ମହାଭାରତର ମୁଖ୍ୟ ଖଳନାୟକ ଭାବେ ତାଙ୍କୁ ଚିତ୍ରଣ କରାଯାଇଛି । ସେ ଥିଲେ ଗାନ୍ଧାରୀଙ୍କ ଭାଇ ତଥା ଏବଂ ଦୁର୍ଯ୍ୟୋଧନଙ୍କ ମାମୁଁ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ୱତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ଜାନକୀ ବଲ୍ଲଭ ପଟ୍ଟନାୟକ (୩ ଜାନୁଆରୀ ୧୯୨୭ - ୨୧ ଅପ୍ରେଲ ୨୦୧୫) ଜଣେ ରାଜନୀତିଜ୍ଞ, ବାଗ୍ମୀ, ସାମ୍ବାଦିକ ଓ ଲେଖକ ଥିଲେ । ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଆସାମର ରାଜ୍ୟପାଳ, ତିରୁପତି ରାଷ୍ଟ୍ରୀୟ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳାଧିପତି, ଅଖିଳ ଭାରତୀୟ ପ୍ରାଚ୍ୟବିଦ୍ୟା ସମ୍ମେଳନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଥିଲେ । ସେ ରାଜନେତା ଜୟନ୍ତୀ ପଟ୍ଟନାୟକଙ୍କୁ ବିବାହ କରିଥିଲେ । ରାଜନେତା ଓ ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ ତାଙ୍କ ଜ୍ୱାଇଁ ଓ ସମ୍ବାଦର ସମ୍ପାଦକ ତନୟା ପଟ୍ଟନାୟକ ତାଙ୍କ ନାତୁଣୀ । ସେ 'ଇଷ୍ଟର୍ଣ୍ଣ ଟାଇମ୍ସ' ଖବରକାଗଜରୁ ସାମ୍ବାଦିକ ଭାବେ ନିଜର କର୍ମଜୀବନ ଆରମ୍ଭ କରି ପରେ ତାହାର ସମ୍ପାଦକ ହୋଇଥିଲେ । ସେ ଓଡ଼ିଆ ଦୈନିକ ପ୍ରଜାତନ୍ତ୍ରର ମଧ୍ୟ ସମ୍ପାଦକ ହୋଇ ୧୯୬୭ ପର୍ଯ୍ୟନ୍ତ ସେହି ଭାରରେ ଥିଲେ । ୧୯୬୭ ମସିହାରେ ସେ ପୌରୁଷ ପତ୍ରିକା ପ୍ରତିଷ୍ଠା କରି ତାହାର ସମ୍ପାଦକ ଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଓଡ଼ିଆ ଭାଷାର ସବୁଠାରୁ ଅଧିକ ଜଣାଶୁଣା ଜ୍ଞାନକୋଷ(ଏନସାଇକ୍ଲୋପିଡ଼ିଆ) ହେଉଛି ଶ୍ରୀ ବିନୋଦ କାନୁନଗୋଙ୍କ ପ୍ରଣୀତ ଜ୍ଞାନମଣ୍ଡଳ । ବିନୋଦ ୧୯୫୪ ମସିହା ବେଳକୁ ଜ୍ଞାନମଣ୍ଡଳର ପରିକଳ୍ପନା କରିଥିଲେ । ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ୧୯୩୦ ମସିହା ବେଳକୁ ସ୍ୱାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ । ସେଥିପାଇଁ ତାଙ୍କୁ ଦଶମ ଶ୍ରେଣୀ ପ୍ରାରମ୍ଭରୁ ସ୍କୁଲ ଛାଡ଼ିବାକୁ ପଡ଼ିଥିଲା । ସ୍ୱାଧୀନତା ଆନ୍ଦୋଳନ ସମୟରେ ଗାନ୍ଧିଜୀ, ରମାଦେବୀ, ଗୋପବନ୍ଧୁ ଚୌଧୁରୀ ଆଦି ଅନେକ ମହାନ ବ୍ୟକ୍ତିଙ୍କଦ୍ୱାରା ପ୍ରଭାବିତ ହୋଇଥିଲେ । ଦେଶ ସ୍ୱାଧୀନ ହେବା ପରେ ସେ ରାଜନୀତିକୁ ପାଥେୟ ନକରି ସାଧରଣଲୋକଙ୍କ ନିମନ୍ତେ ସରଳଭାଷାରେ ଲେଖିବା ପାଇଁ ସ୍ଥିର କଲେ । ସେଇଥିରୁ ଜନ୍ମ ନେଲା ଜ୍ଞାନମଣ୍ଡଳ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ । କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ଦାର୍ଶନିକ ହୁଏନସାଂ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ହୋମଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ହୋମ ଧୂଆଁ ବିଷୟରେ ବର୍ଣ୍ଣନା କରିଛନ୍ତି । ଉତ୍କଳ ବ୍ରାହ୍ମଣମାନଙ୍କର କିଛି ଉପନାମ ଦାଶ, ମିଶ୍ର, ରଥ, କର, ଆଚାର୍ଯ୍ୟ, ତ୍ରିପାଠୀ, ଷଡ଼ଙ୍ଗୀ, ଶର୍ମା, ଦାଶଶର୍ମା, ରଥଶର୍ମା, ନନ୍ଦ, ପଣ୍ଡା, ପାଢୀ, ପାଣି, ପାଣିଗ୍ରାହୀ, ପୁଜାପଣ୍ଡା, ବଡ଼ପଣ୍ଡା, ମହାପାତ୍ର, ଶତପଥୀ, ଓତା ଓ ହୋତା ଇତ୍ୟାଦି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
କାଳିଜାଇ ମନ୍ଦିର ଓଡ଼ିଶାର ଚିଲିକା ହ୍ରଦର ଏକ ଛୋଟ ଦ୍ୱୀପ ମଧ୍ୟରେ ଅବସ୍ଥିତ। ନୀଳ ଜଳର ଚଦରରେ ଆବୃତ ହୋଇ ଥିବା ଏହି ପବିତ୍ର ସ୍ଥାନ ଓଡ଼ିଶା ପର୍ଯ୍ୟଟନର ଏକ ଐତିହାସିକ କିମ୍ବଦନ୍ତୀ ଭାବେ ଜଣାଶୁଣା। ପ୍ରାୟ ୨୯ ଏକର ପାହାଡରେ ପରିପୂର୍ଣ୍ଣ ଏ ଦ୍ୱୀପରେ ମା’ କାଳିଜାଇ ପୂଜା ପାଉଛନ୍ତି । କାଳିଜାଇ ଚିଲିକାର ଏକ ସ୍ୱତନ୍ତ୍ର ଆକର୍ଷଣ । ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଏଠାକୁ ମା’ଙ୍କ ଦର୍ଶନ ପାଇଁ ଆସିଥନ୍ତି । ମକର ସଂକ୍ରାନ୍ତିରେ କାଳିଜାଇ ପୀଠରେ ପ୍ରସିଦ୍ଧ ମକରମେଳା ଅନୁଷ୍ଠିତ ହୁଏ । ଜାନୁଆରୀ ମାସରେ ପଡୁଥିବା ମକରମେଳା ଏଠାକାର ଏକମାତ୍ର ଲୋକପ୍ରିୟ ପର୍ବ । ଏହି ପର୍ବରେ ଆଖପାଖ ଅଞ୍ଛଳର ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।
ଚକ୍ରଧର ବେହେରା (୧୬ ଜୁଲାଇ ୧୮୯୪ - ୧ ଜାନୁଆରୀ ୧୯୭୩), ଲୋକପ୍ରିୟ ବିପ୍ଲବୀ ଭାବରେ ପରିଚିତ। ସେ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ରାଜନୀତିଜ୍ଞ ଓ କବି ଥିଲେ । ସେ ବ୍ରିଟିଶ ସରକାର ଓ କନିକା ରାଜାଙ୍କ ମିଳିତ ଶକ୍ତି ବିରୋଧରେ ହେଇଥିବା ଚାଷୀ ବିଦ୍ରୋହର ମୁଖ୍ୟ ନାୟକ ଥିଲେ। ସେ ମଧ୍ୟ ସ୍ୱାଧୀନତା ପୂର୍ବରୁ ଏବଂ ସ୍ୱାଧୀନତା ପରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।