ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପାର୍ବତୀ ଗିରୀ (୧୯ ଜାନୁଆରୀ ୧୯୨୬- ୧୯୯୫) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ, ସେ ପଶ୍ଚିମ ଓଡ଼ିଶାର ମଦର ଟେରେସା ଭାବେ ପରିଚିତ । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ନାରୀ ସ୍ୱାଧୀନତା ସଂଗ୍ରାମୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛନ୍ତି । ସେ ଅବିଭାଜିତ ସମ୍ବଲପୁର ଜିଲ୍ଲା ତଥା ବର୍ତ୍ତମାନର ବରଗଡ଼ ଜିଲ୍ଲାର ବିଜେପୁର ନିକଚବର୍ତ୍ତୀ ସମଲାଇପଦର ଗ୍ରାମରେ ୧୯ ଜାନୁଆରୀ ୧୯୨୬ ମସିହାରେ ଜନ୍ମଗ୍ରହଣ କରିଥିଲେ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମରେ ଛତିଶଗଡ଼, ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ରାଜ୍ୟ ଅଛି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି ଲୋକ ଏହି ଭାଷାରେ କଥିତ ହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଦ୍ଵାରା ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର ବିକାଶ ହୋଇଥିଲା । ଖ୍ରୀ.ପୂ.
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଦାଶରଥି ଦାସ (ଜନ୍ମ: ୨୭ ଜୁଲାଇ ୧୯୩୬), ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ, ପ୍ରାବନ୍ଧିକ ତଥା ସମାଲୋଚକ । ସେ କେନ୍ଦ୍ରାପଡ଼ା ଜିଲ୍ଲାର ଅୟତପୁରଠାରେ ୧୭ ଜୁଲାଇ ୧୯୩୬ରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟ ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ ଏବଂ ସାହିତ୍ୟର ବିଭିନ୍ନ ବିଭାଗ ଉପରେ ଆଧାରିତ ପ୍ରାୟ ଦଶରୁ ଉର୍ଦ୍ଧ ପୁସ୍ତକ ରଚନା କରିସାରିଛନ୍ତି ।
ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୁଏ । ଉକ୍ତ ଦିନ ସନ୍ଧ୍ୟା ଆଳତି ବେଶରେ ମାଳଚୂଳମାନ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁରମାନଙ୍କୁ ଲାଗି କରାଯାଇଥାଏ । ଉକ୍ତ ଦିନ ବଡ଼ସିଂହାର ବେଶରେ ସୋଲ ଓ ଜରି , କଇଁଥ ଅଠାରେ ପ୍ରସ୍ତୁତ ଶଙ୍ଖ, ଚକ୍ର,ହଳ,ମୁଷକ,କୁଣ୍ଡଳ ଡଡଗୀ ଇତ୍ୟାଦି ଜଗନ୍ନାଥ ,ବଳଭଦ୍ର ଓ ସୁଭଦ୍ରାଙ୍କୁ ଲାଗି କରାଯାଇଥାଏ । ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ ଓ ଶଙ୍ଖ,ଚକ୍ର,ହଳ,ମୁଷକ ଇତ୍ୟାଦି ଧାରଣ କରିଥାନ୍ତି । ଏହି ବେଶ ନବାଙ୍କ ବେଶ ରୂପେ ପରିଚିତ । ଏହି ବେଶର ପ୍ରବର୍ତ୍ତକ ହେଉଛନ୍ତି ଚୈତନ୍ୟ ଦେବ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ (୧୩ ଜାନୁଆରୀ ୧୯୦୦ - ୨୭ ଫେବୃଆରୀ ୧୯୬୩) ଖଲ୍ଲିକୋଟର ଭୂତପୂର୍ବ ରାଜା ଏବଂ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ଚାରିଥର କାର୍ଯ୍ୟ କରିଥିଲେ । ୧୯୩୬ ସ୍ୱାଧୀନତା ପୂର୍ବର ପ୍ରଥମ ଓଡ଼ିଶା ବିଧାନ ସଭାକୁ କୋଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ଭାରତ ସ୍ୱାଧୀନ ହେବା ପରେ ୧୯୫୨, ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଦଳା ଓ ଖଲ୍ଲିକୋଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପି.ଏସ୍.ଏଲ୍.ଭି–ସି୬୨ (PSLV-C62) ହେଉଛି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ପୋଲାର ସ୍ୟାଟେଲାଇଟ୍ ଲଞ୍ଚ ଭେହିକଲ୍ (ପି.ଏସ୍.ଏଲ୍.ଭି) ଶୃଙ୍ଖଳାର ୬୪ତମ ଉଡାଣ। ଏହା ପି.ଏସ୍.ଏଲ୍.ଭି–ସି୬୧ ପରେ ହୋଇଥିବା ମିଶନ୍। ଏହି ମିଶନଟିରେ ଅନ୍ଵେଷା EOS-N1 ନାମକ କୃତ୍ରିମ ଉପଗ୍ରହକୁ ପୃଥିବୀ ପୃଷ୍ଠଭାଗରୁ ପ୍ରାୟ ଦୁଇଶହ କିଲୋମିଟର ଉପରେ ଥିବା ଏକ କକ୍ଷପଥରେ ପହଞ୍ଚାଇବାର ଲକ୍ଷ୍ୟ ଥିଲା। ଏହି ୨୦୨୬ ଜାନୁଆରୀ ୧୨ ତାରିଖରେ କରାଯାଇଥିବା ଏହି ପ୍ରକ୍ଷେପଣ ଅନ୍ଵେଷା ସହ ଗ୍ରାହକମାନଙ୍କ ପାଇଁ ବହୁ ପେଲୋଡ୍ ସହ କରାଯାଇଥିଲା ।
ମୁପ୍ପଭରପୁ ଭେଙ୍କେୟା ନାଇଡୁ (ତେଲୁଗୁ: వెంకయ్య నాయుడు / ଭେଙ୍କେୟା ନାଇଡୁ, ଜନ୍ମ: ୧ ଜୁଲାଇ ୧୯୪୯) ଭାରତର ପୂର୍ବତନ (୧୩ତମ) ଉପରାଷ୍ଟ୍ରପତି । ସେ ୨୦୦୨ ରୁ ୨୦୦୪ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟିର ଜାତୀୟ ଅଧ୍ୟକ୍ଷ ଥିଲେ । କେନ୍ଦ୍ର ସରକାରରେ ବିଭିନ୍ନ ବିଭାଗର ମନ୍ତ୍ରୀ ପଦ ମଧ୍ୟ ସେ କାର୍ଯ୍ୟ ନିର୍ବାହ କରିଛନ୍ତି । ଭାରତର ଶାସକ ଦଳ ଜାତୀୟ ଲୋକତାନ୍ତ୍ରିକ ଗଠବନ୍ଧନ (ଏନଡିଏ) ୧୭ ଜୁଲାଇ ୨୦୧୭ ରେ ତାଙ୍କୁ ଭାରତର ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା । ୫ ଅଗଷ୍ଟ ୨୦୧୭ ରେ ହୋଇଥିବା ନିର୍ବାଚନରେ ସେ ଗୋପାଳ କୃଷ୍ଣ ଗାନ୍ଧୀଙ୍କୁ ପରାଜିତ କରି ଭାରତର ତେରତମ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହେଲେ ଏବଂ ୧୧ ଅଗଷ୍ଟ ୨୦୧୭ ରେ ଉପରାଷ୍ଟ୍ରପତି ପଦ ଗ୍ରହଣ କଲେ ।
ଆର୍ତ୍ତବଲ୍ଲଭ ମହାନ୍ତି (୩୦ ଜୁଲାଇ ୧୮୮୭–୩୦ ସେପ୍ଟେମ୍ବର ୧୯୬୩) ଜଣେ ଓଡ଼ିଆ ଲେଖକ, ଶିକ୍ଷାବିତ୍ ଓ ପ୍ରଫେସର ଥିଲେ । ସେ ପ୍ରାଚୀ ସମିତିର ପ୍ରତିଷ୍ଠାତା ଥିଲେ । ପୁରାତନ ଓଡ଼ିଆ ରଚନାବଳୀରେ ଥିବା ଶୁଦ୍ଧ ସଂସ୍କରଣର ଅଭାବ ଦେଖି ସେ ନିଜେ ଅନେକ ପୋଥି ପଢ଼ି ଓ ଗବେଷଣା କରି ବିଦଗ୍ଧ ଚିନ୍ତାମଣି, ମଥୁରା ମଙ୍ଗଳ ସମେତ ଅନ୍ୟାନ୍ୟ ଗ୍ରନ୍ଥର ଶୁଦ୍ଧ ସଂସ୍କରଣ ପ୍ରାଚୀ ସମିତିଦ୍ୱାରା ପ୍ରକାଶ କରିଥିଲେ । ପରବର୍ତ୍ତୀ ସମୟରେ ପ୍ରାଚୀ ସମିତି ତାହାର ପ୍ରକାଶିତ ଅନେକ ପୁରୁଣା ଗ୍ରନ୍ଥ ଓ ତାଳପତ୍ର ପୋଥିଗୁଡ଼ିକ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଅର୍ପଣ କରିଥିଲା । ଉତ୍କଳ ବିଶ୍ୱବିଦ୍ୟାଳୟ ଏଗୁଡ଼ିକୁ ପ୍ରାଚୀ ଗ୍ରନ୍ଥମାଳା ନାମରେ ପ୍ରକାଶିତ କରିଥିଲା । ଭାରତ ସରକାର ତାଙ୍କୁ ୧୯୬୦ ମସିହାରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରିଥିଲା । ଏହା ପୂର୍ବରୁ ସେ ୧୯୩୨ରେ ରାୟ ସାହେବ ଓ ୧୯୪୩ରେ ରାୟ ବାହାଦୁରରେ ଉପାଧୀ ମଧ୍ୟ ପାଇଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଯୁଗଳ କିଶୋର ଦତ୍ତ(୨୪ ଡିସେମ୍ବର ୧୯୨୮ - ୨୧ ଫେବୃଆରୀ ୨୦୨୦) ଜଣେ କେଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଅନୁବାଦକ ଥିଲେ । ସେ ପ୍ରାୟ ୧୫୦ଟି ବଙ୍ଗଳା ଉପନ୍ୟାସକୁ ଓଡ଼ିଆରେ ଅନୁବାଦ କରିଥିଲେ । ଅନୁବାଦ ବ୍ୟତିତ ସେ ମୌଳିକ ସାହିତ୍ୟ ରଚନା ମଧ୍ୟ କରିଥିଲେ । ଗୋଟିଏ ବର୍ଷରେ ଉଭୟ କେନ୍ଦ୍ର ଓ ରାଜ୍ୟ ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର ପାଇବାରେ ସେ ଏକମାତ୍ର ବ୍ୟକ୍ତି । ଭୁବନେଶ୍ୱରରେ ପୁସ୍ତକମେଳା ଆୟୋଜନରେ ସେ ମୁଖ୍ୟ ଭୂମିକା ନିର୍ବାହ କରୁଥିଲେ ।
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଶ୍ରୀନିବାସ ଉଦ୍ଗାତା (ଜନ୍ମ: ୭ ଜାନୁଆରୀ ୧୯୩୫) ଜଣେ ଓଡ଼ିଆ କବି, ଲେଖକ, ଔପନ୍ୟାସିକ, ନାଟ୍ୟକାର ଏବଂ ଅନୁବାଦକ । ଉଦ୍ଗାତା ବିଭିନ୍ନ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ଓଡ଼ିଆ ସାହିତ୍ୟର ପ୍ରଚାର କରିଛନ୍ତି । ତାଙ୍କର ଏଯାବତ ପ୍ରାୟ ୨୧୦ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇସାରିଛି । ୧୯୯୪ରୁ ୧୯୯୭ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ଅଧ୍ୟକ୍ଷ ଭାବରେ କାର୍ଯ୍ୟନିର୍ବାହ କରିଛନ୍ତି । ସାହିତ୍ୟ ପାଇଁ ତାଙ୍କର ଅବଦାନ ନିମନ୍ତେ ୨୦୦୮ ମସିହାରେ ପଦ୍ମଶ୍ରୀ ଉପାଧୀରେ ସମ୍ମାନୀତ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ସମ୍ରାଟ ଜାହାଙ୍ଗୀରଙ୍କ ତୃତୀୟ ସନ୍ତାନ ଶାହଜାହାନ ୧୫୯୨ ମସିହା ଜାନୁଆରୀ ୫ତାରିଖରେ ଜନ୍ମଗ୍ରହଣ କରିଥିଲେ । ଜାହାଙ୍ଗୀରଙ୍କ ମୃତ୍ୟୁପରେ ନିଜର ସବୁ ଭାଇଙ୍କୁ ହତ୍ୟା କରି ସେ ୧୬୨୮ ଫେବୃଆରୀ ୪ ତାରିଖରେ ସିଂହାସନ ଆରୋହଣ କରିଥିଲେ । ତାଙ୍କର ୩ ପତ୍ନୀ ମଧ୍ୟରୁ, ଦ୍ୱିତୀୟ ଥିଲେ ମମତାଜ, ମମତାଜଙ୍କ ସହ ତାଙ୍କ ବିବାହ୧୬୧୨ ମସିହାରେ ହୋଇଥିଲା । ୧୬୩୧ରେ ମମତାଜଙ୍କ ମୃତ୍ୟୁ ପରେ, ତାଙ୍କ ସ୍ମୃତିରେ ସେ ତାଜମହଲ ନିର୍ମାଣ କରିଥିଲେ । ଦିଲ୍ଲୀର ଜାମା ମସଜିଦ ଓ ଆଗ୍ରାର ମୋତି ମସଜିଦ ମଧ୍ୟ ତାଙ୍କଦ୍ୱାରା ନିର୍ମିତ ହୋଇଥିଲା । ଶାହଜାହାନାବାଦ ନାମରେ ସେ ଏକ ନୂଆ ରାଜଧାନୀ ଗଢ଼ିଥିଲେ । ୧୬୫୮ ମସିହାରେ ଶାହଜାହାନଙ୍କ ପୁତ୍ର ଆଉରଙ୍ଗଜେବ ତାଙ୍କୁ ବନ୍ଦୀ କରି ସିଂହାସନ ଆରୋହଣ କରିଥିଲେ । ଦୀର୍ଘ ୮ବର୍ଷ ବନ୍ଦୀ ଜୀବନ ବିତାଇବାପରେ ୨୨ ଜାନୁଆରୀ ୧୬୬୬ରେ ତାଙ୍କର ମୃତ୍ୟୁ ଘଟିଥିଲା ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।