ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପଦ୍ମପୁରାଣର ପ୍ରାଚୀ ମାହାତ୍ମ୍ୟରେ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରାଯାଇଛି I ସେହି ଅର୍କ ତୀର୍ଥ ପରବର୍ତ୍ତୀ କାଳରେ ‘ ଚନ୍ଦ୍ରଭାଗା ତୀର୍ଥ ’ ନାମରେ ପ୍ରସିଦ୍ଧ ହୋଇଛି I ସ୍ୱର୍ଗର ପୁଣ୍ୟତୋୟା ସରସ୍ୱତୀ ମର୍ତ୍ତ୍ୟଲୋକରେ ପ୍ରାଚୀ ନାମରେ ପ୍ରବାହିତ ହୋଇଥିଲେ I ତା’ପରେ ଏହା ଚିତ୍ରୋତ୍ପଳା, କାଦୁଆ ଓ ଶେଷରେ ଚନ୍ଦ୍ରଭାଗା ନାମରେ କୋଣାର୍କ ନିକଟରେ ସମୁଦ୍ରରେ ପଡ଼ିଥିଲା I ଶାମ୍ବ ଏହି ଚନ୍ଦ୍ରଭାଗା ନଦୀକୂଳରେ ସୂର୍ଯ୍ୟ ଉପାସନା କରି କୁଷ୍ଠରୋଗରୁ ମୁକ୍ତିଲାଭ କରିଥିଲେ I ଏହି ଚନ୍ଦ୍ରଭାଗା ନଦୀରେ ସ୍ନାନ କରୁଥିବା ସମୟରେ ଶାମ୍ବ ସୂର୍ଯ୍ୟଙ୍କର ମଣିବିଗ୍ରହ ପାଇଥିଲେ ଏବଂ ସ୍ୱୟଂ ସୂର୍ଯ୍ୟଦେବ ତାଙ୍କର ସେହି ମୂର୍ତ୍ତିକୁ ଚନ୍ଦ୍ରଭାଗା ନଦୀ ତୀରରେ ମନ୍ଦିର ନିର୍ମାଣ ପାଇଁ ଶାମ୍ବଙ୍କୁ ନିର୍ଦ୍ଦେଶ ଦେଇଥିଲେ I ତେଣୁ ପ୍ରାଚୀନ କାଳରୁ ଚନ୍ଦ୍ରଭାଗା ଏକ ପୂଣ୍ୟତୀର୍ଥ ରୂପେ ଖ୍ୟାତି ଅର୍ଜନ କରିଆସିଛି I ସାରଳା ଦାସଙ୍କ ମହାଭାରତର ବନ ପର୍ବରେ ଅର୍କକ୍ଷେତ୍ର ବିଷୟରେ ଉଲ୍ଲେଖ ଅଛି ଯେ ମକର ମାସ ଅର୍ଥାତ ପବିତ୍ର ମାଘ ସପ୍ତମୀ ତିଥିରେ ସୂର୍ଯ୍ୟଦେବ ‘ ଅର୍କ ’ ନାମକ ଏକ ଦୈତ୍ୟକୁ ପାତାଳକୁ ଚାପି ତୀର୍ଥ ଅର୍କତୀର୍ଥ ସୃଷ୍ଟି କରିଥିବାରୁ ପ୍ରତିବର୍ଷ ମାଘ ଶୁକ୍ଳ ସପ୍ତମୀ ଦିନ ଏହିତୀର୍ଥରେ ପବିତ୍ର ସ୍ନାନ ଉତ୍ସବ ଅନୁଷ୍ଠିତ ହୁଏ I ତେଣୁ ‘ କୋଣାର୍କ ’ ସୂର୍ଯ୍ୟକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛନ୍ତି I ତେଣୁ ଏହିଦିନରେ ସୂର୍ଯ୍ୟପୂଜା କରାଯାଏ I ପଦ୍ମ ପୁରାଣରେ ପ୍ରାଚୀ ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି ଯେ ସୂର୍ଯ୍ୟଦେବ ନିଜର ପାପ ମୋଚନ ନିମନ୍ତେ ଅର୍କତୀର୍ଥରେ ତପସ୍ୟା କରି ମୁକ୍ତିଲାଭ କରିଥିଲେ I ମହାଦେବ ମଧ୍ୟ ଏଠାରେ ତପସ୍ୟା କରି ବ୍ରହ୍ମାଶିର ଛେଦନ ଜନିତ ପାପରୁ ମୁକ୍ତି ପାଇଥିଲେ I ସୂର୍ଯ୍ୟଦେବ ଶିବଙ୍କୁ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରି କହିଛନ୍ତି -
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଅପାମାର୍ଗ ଏକ ପ୍ରକାର ଗୁଳ୍ମ ଜାତୀୟ ଉଦ୍ଭିଦ। ଉଚ୍ଚତାରେ ପ୍ରାୟ ଦେଢ଼ଫୁଟରୁ ଦୁଇଫୁଟ ହୋଇଥାଏ। ଗଛର ରଙ୍ଗ ଅନୁସାରେ ଧଳା ଓ ଲାଲ୍ ଭେଦରେ ଏହା ଦୁଇପ୍ରକାରର। ଲାଲ୍ ଅପାମାର୍ଗ ଅପେକ୍ଷା ଧଳା ଅପାମାର୍ଗ ଅଧିକ ଗୁଣକାରୀ। ଏଇ ପ୍ରକାରର ଆଉ ଏକ ପ୍ରକାରର ଗଛ ଦେଖାଯାଏ ଯାହାକୁ ଲୋକେ ମଇଁଷିଆ ଅପାମାର୍ଗ କହିଥାନ୍ତି, କିନ୍ତୁ ଅପାମାର୍ଗର କୌଣସି ଗୁଣ ଏଥିରେ ନ ଥାଏ। ଏହା ଏକ ଉପକାରୀ ଗଛ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଦାଶ ବେନହୁର (ଜନ୍ମ ୩ ଅଗଷ୍ଟ ୧୯୫୩) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର । ଶିଶୁ ସାହିତ୍ୟ, କ୍ଷୁଦ୍ରଗଳ୍ପ ଓ ଉପନ୍ୟାସ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ତାଙ୍କର ଅବଦାନ ରହିଛି । ପ୍ରବନ୍ଧ ଓ ଗବେଷଣାତ୍ମକ ନିବନ୍ଧ ଆଦି ଲେଖିବାକୁ ସେ ନିଜ ନାମ ଜିତେନ୍ଦ୍ର ନାରାୟଣ ଦାଶ ବ୍ୟବହାର କରୁଥିବା ସମୟରେ ଗଳ୍ପ ଓ ଶିଶୁ ସାହିତ୍ୟ ଦାଶ ବେନହୁର ନାମରେ ଲେଖିଥାନ୍ତି । ଅଧ୍ୟାପନାକୁ ପେସା ଭାବରେ ଗ୍ରହଣ କରିଥିବା ଦାଶ ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ ସେବା ନିବୃତ ହୋଇସାରିଛନ୍ତି । ସାହିତ୍ୟ ଓ ଅଧ୍ୟାପନା ବ୍ୟତିତ ସେ ଜଣେ ସଂଗଠକ ହିସାବରେ 'ପ୍ରଫୁଲ୍ଲ କର ଫାଉଣ୍ଡେସନ, ଇଟିକିଲି ମିଟିକିଲି, ଆମ ଓଡ଼ିଶା ଆଦି ଅନୁଷ୍ଠାନମାନଙ୍କ ସହିତ ଜଡ଼ିତ ଅଛନ୍ତି । ସେ ଆଦିବାସୀ ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ 'ସର୍ଗୀଫୁଲ' ନାମକ ପତ୍ରିକାର ସମ୍ପାଦନା ମଧ୍ୟ କରିଥାନ୍ତି ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ମଧ୍ୟ ପ୍ରଦେଶ ଭାରତର ମଧ୍ୟଭାଗରେ ଥିବା ଏକ ରାଜ୍ୟ ।ଏହାର ରାଜଧାନୀ ଭୋପାଳ । ଏହାର ବଡ଼ ସହର ଇନ୍ଦୋର । ଏହାର ଭୌଗୋଳିକ ଅବସ୍ଥିତି ଯୋଗୁଁ ଏହାକୁ "ଭାରତର ହୃଦୟ" କୁହାଯାଏ । କ୍ଷେତ୍ରଫଳ ଦୃଷ୍ଟିରୁ ଏହା ଦେଶର ଦ୍ୱିତୀୟ ବୃହତମ ରାଜ୍ୟ ଏଟେ । ଜନସଂଖ୍ୟା ଦୃଶ୍ଟିରୁ ଏହା ଦେଶର ପଞ୍ଚମ ବୃହତମ ରାଜ୍ୟ । ଏହାର ଉତ୍ତର-ପଶ୍ଚିମରେ ରାଜସ୍ଥାନ , ପଶ୍ଚମରେ ଗୁଜରାଟ , ଦକ୍ଷିଣରେ ମହାରାଷ୍ଟ୍ର , ଦକ୍ଷିଣ-ପୂର୍ବରେ ଛତିଶଗଡ଼ , ଉତ୍ତର-ପୂର୍ବରେ ଉତ୍ତରପ୍ରଦେଶ ଅଛି ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଆନ୍ତର୍ଜାତିକ ଶିଶୁକନ୍ୟା ଦିବସ ସଂଯୁକ୍ତ ଗଣରାଜ୍ୟଦ୍ୱାରା ଘୋଷିତ ଏକ ଆନ୍ତର୍ଜାତିକ ପାଳନ ଦିବସ । ଏହା କନ୍ୟା ଦିବସ (Day of the Girl) ଭାବେ ମଧ୍ୟ ଜଣା । ସମଗ୍ର ବିଶ୍ୱରେ ଝିଅମାନେ ସାମନା କରୁଥିବା ଲିଂଗଗତ ଅସମାନତା ସଚେତନତା ବୃଦ୍ଧିର ଏକ ସୁଯୋଗ ଶିକ୍ଷା ଅଧିକାର, ପୁଷ୍ଟି, ଆଇନ ଅଧିକାର, ସ୍ୱାସ୍ଥ୍ୟସେବା, ହିଂସା, ଭେଦଭାବ ଏବଂ ଅପରିପକ୍ୱ ବୟସରେ ବିବାହ ଭଳି ଅସମାନତା ବିରୁଦ୍ଧରେ ଏକ ସଚେତନତା ଦିବସ । ଏହା ବ୍ୟତିତ ଶିକ୍ଷା, ପୋଷଣ, କାନୁନ କ୍ଷେତ୍ରରେ ଅଧିକାର, ଚିକିତ୍ସା, ଦେଖାରେଖା, ମହିଳାଙ୍କ ବିରୁଦ୍ଧରେ ହିଂସା ଏବଂ ବାଲ୍ୟ ବିବାହ ପରି ମାମଲାରେ ଶିଳି କନ୍ୟାମନଙ୍କୁ ସୁରକ୍ଷା ଯୋଗାଇଦେବା ଏହାର ଉଦ୍ଦେଶ୍ୟ । ୧୧ ଅକ୍ଟୋବର ୨୦୧୨କୁ ଆନ୍ତର୍ଜାତୀୟ ଶିଶି କନ୍ୟା ଦିବସ ରୂପେ ପାଳନ କରାଯାଇଥାଏ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ରାମାୟଣ, ଭିନ୍ନ ଭାଷା ଓ ପ୍ରକାରଭେଦ ରେ
ହିନ୍ଦୁ ଧାର୍ମିକ ମହାକାବ୍ୟ ରାମାୟଣର ବିଭିନ୍ନ ଭାଷାରେ ଅନ୍ୟୁନ ତିନି ଶହ ବିଭିନ୍ନ ରଚନା ରହିଥିବାର ଜଣାଯାଏ । ସେହି ମଧ୍ୟରୁ ସର୍ବପୁରାତନ ରାମାୟଣ ସନ୍ଥ ବାଲ୍ମୀକିଙ୍କ ରଚିତ ରାମାୟଣ ଓ ଅନେକ ରାମାୟଣ ସେହି ରାମାୟଣକୁ ଆଧାର କରି ଲେଖାଯାଇଛି । ମୂଳ କଥା ବସ୍ତୁ ସବୁ ରାମାୟଣରେ ସମାନ ରହିଥିଲେ ମଧ୍ୟ ବିଭିନ୍ନ ବିଷୟ ବସ୍ତୁରେ ବିବିଧତା ରହିଥାଏ ।
ବୀର ସୁରେନ୍ଦ୍ର ସାଏ ଭେଷଜ ମହାବିଦ୍ୟାଳୟ
ବୀର ସୁରେନ୍ଦ୍ର ସାଏ ଭେଷଜ ମହାବିଦ୍ୟାଳୟ( ଭି ଏସ୍ ଏସ୍ ମେଡିକାଲ) ପଶ୍ଚିମ ଓଡ଼ିଶାର ମୁଖ୍ୟ ତଥା ବୃହତ୍ତମ ଚିକିତ୍ସାଳୟ ତଥା ଭେଷଜ ମହାବିଦ୍ୟାଳୟ। ୧୯୫୯ରେ ସ୍ଥାପିତ ଏହି ଅନୁଷ୍ଠାନଟି ଓଡ଼ିଶାର ଦ୍ୱିତୀୟ ଭେଷଜ ମହାବିଦ୍ୟାଳୟ ଅଟେ। ସମ୍ବଲପୁର ସହରର ନିକଟବର୍ତୀ ହୀରାକୁଦ ବନ୍ଧର ପାଦଦେଶରେ ଥିବା ବୁର୍ଲା ସହରରେ ଏହାର ପରିସର ଅବସ୍ଥିତ।
ହଙ୍ଗେରିଆନ୍ ଉଇକିପିଡ଼ିଆ (ହଙ୍ଗେରିଆନ୍: Magyar Wikipédia) ହେଉଛି ମୁକ୍ତ ଜ୍ଞାନକୋଷ ଉଇକିପିଡ଼ିଆର ହଙ୍ଗେରିଆନ୍/ମାଜ୍ୟାର ଭାଷା ସଂସ୍କରଣ। ଏହା ୮ ଜୁଲାଇ ୨୦୦୩ ତାରିଖରେ ପେତେର୍ ଗେର୍ଭାଇଙ୍କ ଦ୍ୱାରା ଆରମ୍ଭ କରାଯାଇଥିଲା। ମଇ ୨୦୧୫ରେ ଏହି ସଂସ୍କରଣ 300,000 ଟି ଲେଖାର ମାଇଲସ୍ଟୋନ୍ ପୂରଣ କରିଥିଲା। 16 ଫେବୃଆରୀ 2022 ରେ 500,000ତମ ଲେଖା ସୃଷ୍ଟି ହୋଇଥିଲା। ୨୪ ଜାନୁଆରୀ ୨୦୨୬ ସୁଦ୍ଧା, ଏହି ସଂସ୍କରଣରେ 565,504 ଟି ଲେଖା ରହିଛି ଏବଂ ଏହା ଉଇକିପିଡ଼ିଆର ୩୦ତମ ସବୁଠାରୁ ବଡ଼ ସଂସ୍କରଣ।
ମାର୍କଣ୍ଡ ଦାସ ଜଣେ ଭାରତୀୟ ପୁରାତନ କବି ଥିଲେ । ସେ ଓଡ଼ିଶାରେ ଜନ୍ମିତ ଓ ଓଡ଼ିଆ ସାହିତ୍ୟ ରଚନା କରିଥିଲେ । ତାଙ୍କର ଜନ୍ମ ସମୟ ଆନୁମାନିକ ପଞ୍ଚଦଶ ଶତାବ୍ଦୀରେ ହୋଇଥିଲା । ତାଙ୍କର ଏକମାତ୍ର ରଚନା କେଶବ କୋଇଲି ଏପର୍ଯ୍ୟନ୍ତ ଲୋକଲୋଚନକୁ ଆସିଛି । କେଶବ କୋଇଲି ଏକ କୋଇଲି ବା ପଦାବଳୀ । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ସ୍ଲୋଭେନିଆନ୍ ଉଇକିପିଡ଼ିଆ (ସ୍ଲୋଭେନିଆନ୍: slovenska Wikipedija) ହେଉଛି ମୁକ୍ତ ଅନଲାଇନ୍ ବିଶ୍ୱକୋଷ ଉଇକିପିଡ଼ିଆର ସ୍ଲୋଭେନିଆନ୍-ଭାଷା ସଂସ୍କରଣ। ଏହା ୨୬ ଫେବୃଆରୀ ୨୦୦୨ ଠାରୁ ସକ୍ରିୟ ଅଛି । ୧୫ ଅଗଷ୍ଟ ୨୦୧୦ରେ ଏହା 100,000 ଟି ଲେଖାର ସୀମା ଅତିକ୍ରମ କରିଥିଲା । ୨୪ ଜାନୁଆରୀ ୨୦୨୬ ଅନୁସାରେ, ଏହି ସଂସ୍କରଣରେ 196,342 ଟି ନିବନ୍ଧ ଅଛି ଏବଂ ଏହା ଆକାରରେ ୫୬ତମ ସର୍ବବୃହତ୍ ଉଇକିପିଡ଼ିଆ ଅଟେ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ଼ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ନାରାୟଣ ସାହୁ (ଜନ୍ମ: ୩୧ ମାର୍ଚ୍ଚ ୧୯୩୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର ଓ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୧ ଓ ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଲଲହଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୦ ଭାରତୀୟ ସାଧାରଣ ନିର୍ବାଚନରେ ସେ ଦେବଗଡ଼ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।