ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ୱିକିପିଡ଼ିଆ ଜିରୋ ଉଇକିମିଡ଼ିଆ ଫାଉଣ୍ଡେସନ ଦ୍ୱାରା ଆରମ୍ଭ କରାଯାଇଥିବା ଏକ ପ୍ରକଳ୍ପ ଥିଲା, ଯାହା ଜିରୋ-ରେଟିଂ ପ୍ରଣାଳୀ ମାଧ୍ୟମରେ ମୋବାଇଲ୍ ଫୋନରେ ବିନାମୂଲ୍ୟରେ ବିଶେଷକରି ବିକାଶଶୀଳ ବଜାରଗୁଡ଼ିକରେ ୱିକିପିଡ଼ିଆରେ ପ୍ରବେଶ ସୁବିଧା ପ୍ରଦାନ କରୁଥିଲା । ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ଥିଲା ନିମ୍ନ-ଆୟ ଶିକ୍ଷାର୍ଥୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ମୁକ୍ତ ଜ୍ଞାନ କୋଷରେ ପ୍ରବେଶ ସୁଗମ କରିବା, ଯାହା ପାଇଁ ନେଟୱାର୍କ ଟ୍ରାଫିକ୍ ଖର୍ଚ୍ଚକୁ ମାଫ କରାଯାଉଥିଲା। ୭୨ରୁ ଅଧିକ ଦେଶର ୯୭ଟି ଅପରେଟରଙ୍କ ସହଭାଗିତାରେ, ଏହି ପ୍ରକଳ୍ପ ମାଧ୍ୟମରେ ୮୦ କୋଟିରୁ ଅଧିକ ଲୋକଙ୍କୁ ୱିକିପିଡ଼ିଆ ପ୍ରବେଶ ସୁବିଧା ଦିଆଯାଇଥିବା ଅନୁମାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ୨୦୧୮ ମସିହାରେ ସମାପ୍ତ ହୋଇଥିଲା।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ନେତୃତ୍ୱକୁ ଜଣେ ବ୍ୟକ୍ତି ବିଶେଷର ସାମାଜିକ ପ୍ରଭାବ ପ୍ରାପ୍ତ କରିବାର ଏକ ପ୍ରକ୍ରିୟା ରୂପେ ବର୍ଣ୍ଣନା କରାଯାଇଛି ଯେଉଁଥିରେ ସେ ଅନେକ ଲୋକଙ୍କର ସାହାଯ୍ୟ ଓ ସମର୍ଥନରେ ଗୋଟିଏ ସାମୁହିକ କାର୍ଯ୍ୟ ହାସଲ କରିଥାଏ ।}} ଉଦାହରଣ ସ୍ୱରୂପ କିଛି ଲୋକ ନେତୃତ୍ୱମାନେ ବୁଝନ୍ତି କେବଳ ଯଦି କୌଣସି ବ୍ୟକ୍ତିକୁ କିଛି ଲୋକ ଅନୁସରଣ କଲେ ,ଅଥବା କେହି ଯଦି ମାର୍ଗଦର୍ଶନ ବା ଦିଗ ପ୍ରଦର୍ଶନ କରନ୍ତି, ଆଉ ଅନେକ ମଧ୍ୟ ଚିନ୍ତା କରନ୍ତି ଯେ ନେତୃତ୍ୱ "ଜନସମୂହକୁ ଏକ ସାମୁହିକ ଲକ୍ଷ ପାଇଁ ଏକତ୍ରିତ କରିବା" ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓସାମା ଖାଲିଦ (ଆରବୀ: أسامة خالد, ରୋମାନାଇଜ୍ଡ: ʾUsāma Khālid, ଉଚ୍ଚାରଣ [ʔuˈsaːma ˈxaːlid]; ଜନ୍ମ 19 ଜାନୁଆରୀ 1994) ଜଣେ ସାଉଦି ଆରବୀୟ ଚିକିତ୍ସକ ଏବଂ ଉଇକିପିଡ଼ିଆ ପ୍ରଶାସକ, ଯିଏ ୨୦୨୦ ମସିହାରେ ୩୨ ବର୍ଷ କାରାଦଣ୍ଡରେ ଦଣ୍ଡିତ ହୋଇଥିଲେ । ମାନବାଧିକାର କାର୍ଯ୍ୟକର୍ତ୍ତାମାନଙ୍କ ଅନୁସାରେ, ସାଉଦି ଆରବରେ ରାଜନୈତିକ କାର୍ଯ୍ୟକର୍ତ୍ତାମାନଙ୍କ ଉପରେ ହେଉଥିବା ଦମନ ବିଷୟରେ ଉଇକିପିଡ଼ିଆରେ ସୂଚନା ଯୋଗାଇବା ହେଉଛି ତାଙ୍କ ଗିରଫ ଓ କାରାଦଣ୍ଡର ପ୍ରଧାନ କାରଣ।
ଅସୀମା ପଣ୍ଡା ଜଣେ ଓଡ଼ିଆ କଣ୍ଠଶିଳ୍ପୀ । ସେ ମୁଖ୍ୟତଃ ଓଡ଼ିଆ ଏବଂ ସମ୍ବଲପୁରୀ ଗୀତ ଗାଆନ୍ତି । ଅସୀମା ଓଡ଼ିଆ ଆଲବମ୍, ଭଜନ ଓ କଥାଚିତ୍ର ଜଗତରେ ଜଣେ ଜଣାଶୁଣା ଗାୟିକା । ଅସୀମା ପଣ୍ଡା ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ଗାଇବା ଆରମ୍ଭ କରିଥିଲେ । ଓଡ଼ିଆ କଥାଚିତ୍ର ହରି ଓମ୍ ହରିରେ ସେ ପ୍ରଥମଥର ପାଇଁ ଓଡ଼ିଆ କଥାଚିତ୍ର ପାଇଁ ଗୀତ ଗାଇଥିଲେ ଏବଂ ଏହାପରେ ଗଞ୍ଜା ଲଢ଼େଇ, ୱାନ୍ ୱେ ଟ୍ରାଫିକ୍, ଗଞ୍ଜା ଲଢ଼େଇ, ଆଶିକ୍, ତୁ କହିବୁ ନା ମୁଁ, ତୁ ମୋର ସପନ ରାଣୀ, ପ୍ରେମର ନିଶା ନିଆରା ନିଆରା, ମୁଁ ପରଦେଶୀ ଚଢ଼େଇ, ତୁ ମୋ ସୁନା ଚଢ଼େଇ, ଫ୍ରମ୍ ମି ଟୁ ୟୁ, ଟାଇଗର, ଲଭ୍ ଟୁଇଷ୍ଟ, ମୁଁ ଖାଣ୍ଟି ଓଡ଼ିଆ ଝିଅ, ତୋ ପ୍ରେମରେ ପଡ଼ିଲା ପରେ, ଏମିତି ବି ହେଇପାରେ, ଅଭିମାନ, ମୁଇଁ ଦିୱାନା ତୁଇ ଦିୱାନୀ, ତୁ ମୋ ହିରୋ, ଅଦୃଶ୍ୟମ୍, ବାପା ତମେ ଭାରି ଦୁଷ୍ଟ, ଦେଲେ ଧରା କଥା ସରେ, ସୀତାରାମଙ୍କ ବାହାଘର କଳିଯୁଗରେ, ସେଲଫିସ୍ ଦିଲ୍, ଏକ୍ସକ୍ୟୁଜ ମି, ଲୋକାଲ ଟୋକା ଲଭ୍ ଚୋଖା, ପ୍ୟାର ଅଲଗା ପ୍ରକାର, ଲଭ୍ ଏକ୍ସପ୍ରେସ୍, ଟିକେ ଅନାଡ଼ି ପୂରା ଖିଲାଡ଼ି, ନାୟକର ନାଁ ଦେବଦାସ, ମିଠା ମିଠା, ଲୈଲା ଓ ଲୈଲା, ହାପି ଲକି, ହେଲୋ- ଇନ୍ ଲଭ୍, ଟୋକାଟା ଫସିଗଲା, ଯୋଗୀ, ବିଶ୍ୱରୂପ ଆଦି କଥାଚିତ୍ରରେ କଣ୍ଠଦାନ କରିଥିଲେ । ଅସୀମା ଓଡ଼ିଆ କଥାଚିତ୍ର ବ୍ୟତୀତ ବିଭିନ୍ନ ଆଲବମ୍ ଗୀତ ଏବଂ ଭଜନରେ କଣ୍ଠଦାନ କରିଛନ୍ତି । ପ୍ରାର୍ଥନା ଟିଭିରେ ପ୍ରସାରିତ ଭଜନ ଅନ୍ତାକ୍ଷରୀ, ପ୍ରାର୍ଥନା ମଞ୍ଚ ଭଳି କାର୍ଯକ୍ରମରେ ଭଜନ ପରିବେଷଣ କରନ୍ତି ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
ଜ୍ୟୋତିଷଶାସ୍ତ୍ର ଏକ ଛଦ୍ମ ବିଜ୍ଞାନ ଅଟେ, ଯାହା ଖଗୋଳିୟ ପିଣ୍ଡର ଚଳଣୀ ଏବଂ ସାପେକ୍ଷ ସ୍ଥିତିର ଅଧ୍ୟୟନ କରି ମନୁଷ୍ୟ ସମ୍ବନ୍ଧୀୟ ବିଷୟ ଏବଂ ସାଂସାରିକ ଘଟଣା ସମ୍ବନ୍ଧରେ ଦିବ୍ୟ କଥାବସ୍ତୁର ଦାବି କରିଥାଏ । ଏହି ଶାସ୍ତ୍ରଦ୍ୱାରା ମନୁଷ୍ୟ ତଥା ପୃଥିବୀର ଗ୍ରହ ଏବଂ ତାରାମାନଙ୍କର ଶୁଭ ତଥା ଅଶୁଭ ପ୍ରଭାବର ଅଧ୍ୟୟନ କରାଯାଇ ପାରେ । ଜ୍ୟୋତିଷ ଶବ୍ଦର ଅର୍ଥ ଗ୍ରହ ତଥା ନକ୍ଷତ୍ରଦ୍ୱାରା ସମ୍ବନ୍ଧିତ ରଖୁଥିବା ବିଦ୍ୟା । ଯଦିଓ ଏହି ଶବ୍ଦରୁ ଗଣିତ (ସିଦ୍ଧାନ୍ତ) ଜ୍ୟୋତିଷର ମଧ୍ୟ ବୋଧ ହୋଇଥାଏ, ତଥାପି ସାଧାରଣ ଲୋକ ଜ୍ୟୋତିଷ ବିଦ୍ୟାଦ୍ୱାରା ଫଳିତ ବିଦ୍ୟାର ଅର୍ଥ ବୋଲି ଭାବି ନିଅନ୍ତି।
ଅଭିଜିତ ମଜୁମଦାର (ଜନ୍ମ : ୧୧ ସେପ୍ଟେମ୍ବର ୧୯୭୧; ମୃତ୍ୟୁ : ୨୫ ଜାନୁଆରୀ ୨୦୨୬) ଜଣେ ଓଡ଼ିଆ କଥାଚିତ୍ର ସଙ୍ଗୀତ ନିର୍ଦ୍ଦେଶକ ଓ ଗାୟକ ଥିଲେ । ୨୦୦୦ ମସିହାରେ ସେ ଓଡ଼ିଆ କଥାଚିତ୍ର ଜଗତରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ଆରମ୍ଭ କରିଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଆଧୁନିକ ଆଲବମ୍, ଭଜନ, ସମ୍ବଲପୁରୀ ଆଲବମ୍, ଓଡ଼ିଆ ଧାରାବାହିକ ଆଦିର ଗୀତ ନିର୍ମାଣ କରନ୍ତି । ୧୯୯୧ ମସିହାରେ ଅଭିଜିତ ପ୍ରଥମ କରି ସଙ୍ଗୀତ ଜଗତରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ତାଙ୍କ ନିର୍ଦ୍ଦେଶିତ ପ୍ରଥମ ସମ୍ବଲପୁରୀ ଆଲବମ୍ ଥିଲା ଦକ୍ସି ଗଲା ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ଢେଙ୍କାନାଳ ଜିଲ୍ଲାର କପିଳାସସ୍ଥିତ ଯୋରନ୍ଦା ଗାଦିଠାରେ ଏହି ପର୍ବ ପାଳନ କରାଯାଏ । ଦୂରଦୂରାନ୍ତରୁ ଅନେକ ଲୋକ ଏଇ ତିନିଦିନିଆଁ ମେଳାରେ ଭାଗ ନେବାକୁ ଆସିଥାନ୍ତି। ଏହିଦିନ ମହିମା ସନ୍ନ୍ୟାସୀମାନେ ମହିମା ଗୋସାଇଁଙ୍କ ସମାଧି ପୀଠରେ ପୂଜାର୍ଚ୍ଚନା କରିଥାନ୍ତି । ଅନେକ ମହିମା ସନ୍ନ୍ୟାସୀ ଏହିଦିନ ବୈରାଗୀରୁ ଅପରା ସନ୍ନ୍ୟାସୀ ଭାବେ ଘୋଷିତ ହୁଅନ୍ତି ।ଏହି ମେଳା ପ୍ରତିବର୍ଷ ମାଘମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ଦିନରେ ଅନୁଷ୍ଠିତ ହୁଏ । ଏହାର ପାଞ୍ଚଦିନ ପୂର୍ବରୁ ତଥା ଦଶମୀ ତିଥିରୁ ମହିମାଗାଦିରେ ସନ୍ନ୍ୟାସୀଙ୍କର ସମାବେଶ ହୁଏ । ତ୍ରୟୋଦଶୀ ପାହାନ୍ତାରେ ମହିମା ମେଳା ଆରମ୍ଭ ହୁଏ ଏବଂ ଏହାକୁ ପାହାନ୍ତା ପୂର୍ଣ୍ଣମୀ ମଧ୍ୟ କୁହାଯାଏ । ଏହି ଉତ୍ସବରେ ବେଢା ପରିକ୍ରମା କାର୍ଯ୍ୟ ହୋଇଥାଏ । ବଳ୍କଳଧାରୀ ମହିମା ସମାଜ ତରଫରୁ ଯେଉଁ ସନ୍ନ୍ୟାସୀମାନେ ବଳ୍କଳ ପାଇବାକୁ ଯୋଗ୍ୟ ଏବଂ କୌପୀନଧାରୀ ସମାଜ ପକ୍ଷରୁ ଯେଉଁମାନେ ଆଡ଼ବନ୍ଧ ପାଇବା ପାଇଁ ମନୋନୀତ ହୁଅନ୍ତି ସେମାନଙ୍କୁ ତାହା ପ୍ରଦାନ କରାଯାଏ । ଏହି ଉତ୍ସବ ଦେଖିବା ପାଇଁ ସାଧାରଣ ଭକ୍ତଙ୍କୁ ଅନୁମତି ନଥାଏ । ତ୍ରୟୋଦଶୀ ସନ୍ଧ୍ୟାରେ କୌପୀନଧାରୀ ମହିମାସମାଜ ଏବଂ ବଳ୍କଳଧାରୀ ମହିମା ସମାଜର କର୍ମକର୍ତ୍ତାଗଣ ନିର୍ବାଚିତ ହୁଅନ୍ତି । ବିଭିନ୍ନ ଦେଶ ବୁଲି ସନ୍ନ୍ୟାସୀମାନେ ଆଦାୟ କରିଥିବା ଅର୍ଥ ଏବଂ ସାମଗ୍ରୀ ମହିମାଗାଦିର କର୍ମକର୍ତ୍ତାଙ୍କ ହାତରେ ଅର୍ପଣ କରନ୍ତି । ଚତୁର୍ଦ୍ଦଶୀ ଦିନ ଦିବା ଦୁଇଘଣ୍ଟା ସମୟରୁ ଉତ୍ସବ ପାଳନର ପ୍ରସ୍ତୁତି ହୁଏ । ଆକାଶରେ ପୂର୍ଣ୍ଣ ଚାନ୍ଦ । ମନ୍ଦିର ବେଢାରେ ବାଦ୍ୟନିନାଦ । ଲୋକାରଣ୍ୟ ହୁଏ ମହିମାପୀଠ । ମୁହୁର୍ମୁହଃ ଉଚ୍ଚାରିତ ହେଉଥାଏ ଅଲେଖ ମହିମା ଶବ୍ଦ । ଆକାଶର ପୂର୍ଣ୍ଣଚନ୍ଦ୍ର ଏବଂ ଘିଅ ଦୀପାଳିର ଆଲୋକ ମିଶି ଗାଦିମନ୍ଦିରର ଶ୍ରୀ ଯୋଗେଶ୍ୱର ମହିମାଙ୍କ ସ୍ମୃତିକୁ ଅବଲୋକନ କରୁଛନ୍ତି ଯେପରି । ମହିମା ଧର୍ମ ଏକ ସ୍ୱତନ୍ତ୍ର ଧର୍ମ ନୁହେଁ ,ଏହା ବିଶୁଦ୍ଧ ହିନ୍ଦୁ ଧର୍ମର ଭିତ୍ତିଭୂମି ଉପରେ ପ୍ରତିଷ୍ଠିତ । କେତେକ ସାହିତ୍ୟିକ ପଣ୍ଡିତ ମତ ଦିଅନ୍ତି ଯେ ମହିମା ଧର୍ମ ବୌଦ୍ଧ ଧର୍ମର ରୂପାନ୍ତର , କିନ୍ତୁ ତାହା ସମ୍ପୂର୍ଣ୍ଣ ଭୁଲ । କାରଣ ବୌଦ୍ଧ ଧର୍ମ ଓ ମହିମା ଧର୍ମର ଲକ୍ଷ୍ୟ ସମ୍ପୂର୍ଣ୍ଣ ଅଲଗା । ବୌଦ୍ଧ ଧର୍ମର ଲକ୍ଷ୍ୟ ନିର୍ବାଣ ପ୍ରାପ୍ତି ଏବଂ ମହିମା ଧର୍ମର ଲକ୍ଷ୍ୟ ବ୍ରହ୍ମଲାଭ । ମହିମା ଧର୍ମରେ ଦୁଇ ଶ୍ରେଣୀର ସନ୍ନ୍ୟାସୀ ଦୃଷ୍ଟିଗୋଚର ହୁଅନ୍ତି I ସେମାନେ ହେଲେ କୌପୀନଧାରୀ ଓ ବଳ୍କଳଧାରୀ । ଦୁଇଗୋଷ୍ଠି ସନ୍ନ୍ୟାସୀଙ୍କର ସୃଷ୍ଟିକର୍ତ୍ତା ନିଜେ ଯୋଗେଶ୍ୱର ମହିମାପ୍ରଭୁ । ସ୍ୱୟଂ ଯୋଗେଶ୍ୱର ମହିମାପ୍ରଭୁ ମହିମାଧର୍ମର ପ୍ରବର୍ତ୍ତକ । ତାଙ୍କର ଜନ୍ମସ୍ଥାନ, ଜନ୍ମକାଳ ଓ ପିତାମାତାଙ୍କ ସମ୍ବନ୍ଧରେ ଏ ପର୍ଯ୍ୟନ୍ତ କୌଣସି ନିର୍ଦ୍ଦିଷ୍ଟ ପ୍ରମାଣ ମିଳିନାହିଁ । ଯୋଗେଶ୍ୱର ମହିମାପ୍ରଭୁ ଅଯୋନିସମ୍ଭୂତ ବୋଲି ଜଣାଯାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ୱୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲା ।