ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ପ୍ରଥମ ଶ୍ରେଣୀ ନ୍ୟାୟିକ ଦଣ୍ଡାଧିକାରୀଙ୍କ ଅଦାଲତ
ଭାରତର ଫୌଜଦାରୀ ଅଦାଲତ ବ୍ୟବସ୍ଥାରେ ପ୍ରଥମ ଶ୍ରେଣୀ ନ୍ୟାୟିକ ଦଣ୍ଡାଧିକାରୀଙ୍କ ଅଦାଲତ ହେଉଛି ପଦାନୁକ୍ରମରେ ଏକ ନିମ୍ନ ସ୍ତରର (ଦ୍ୱିତୀୟ ସ୍ତରର) ଅଦାଲତ । ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ ର ଧାରା ୯ (ଅପରାଧିକ ପ୍ରକ୍ରିୟା ସଂହିତା, ୧୯୭୩(CrPC) ର ଧାରା ୧୧) ଅନୁସାରେ, ସମ୍ବନ୍ଧିତ ରାଜ୍ୟର ଉଚ୍ଚ ନ୍ୟାୟାଳୟ ସହ ପରାମର୍ଶ କରି ରାଜ୍ୟ ସରକାର ଯେ କୌଣସି ଜିଲ୍ଲାରେ ଏପରି ସ୍ଥାନଗୁଡ଼ିକରେ ଏବଂ ଯେକୌଣସି ସଂଖ୍ୟାରେ, ଅଧିସୂଚନା ମାଧ୍ୟମରେ ପ୍ରଥମ ଶ୍ରେଣୀର ନ୍ୟାୟିକ ଦଣ୍ଡାଧିକାରୀଙ୍କ ଅଦାଲତ ସ୍ଥାପନ କରିପାରିବେ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ । କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ଦାର୍ଶନିକ ହୁଏନସାଂ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ହୋମଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ହୋମ ଧୂଆଁ ବିଷୟରେ ବର୍ଣ୍ଣନା କରିଛନ୍ତି । ଉତ୍କଳ ବ୍ରାହ୍ମଣମାନଙ୍କର କିଛି ଉପନାମ ଦାଶ, ମିଶ୍ର, ରଥ, କର, ଆଚାର୍ଯ୍ୟ, ତ୍ରିପାଠୀ, ଷଡ଼ଙ୍ଗୀ, ଶର୍ମା, ଦାଶଶର୍ମା, ରଥଶର୍ମା, ନନ୍ଦ, ପଣ୍ଡା, ପାଢୀ, ପାଣି, ପାଣିଗ୍ରାହୀ, ପୁଜାପଣ୍ଡା, ବଡ଼ପଣ୍ଡା, ମହାପାତ୍ର, ଶତପଥୀ, ଓତା ଓ ହୋତା ଇତ୍ୟାଦି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ପ୍ୟାରୀମୋହନ ଆଚାର୍ଯ୍ୟ (୫ ଅଗଷ୍ଟ ୧୮୫୧ - ୨୮ ଡିସେମ୍ବର ୧୮୮୧) ଜଣେ ଭାରତୀୟ ଐତିହାସିକ ଓ ସମ୍ପାଦକ ଥିଲେ । ପ୍ୟାରୀମୋହନ ୨୦ ବର୍ଷ ବୟସରୁ ମଧୁସୂଦନ ରାଓ ଓ ଗୋବିନ୍ଦ ରଥଙ୍କ ସହିତ ମିଶି ଓଡ଼ିଆରେ ଉତ୍କଳ ପୁତ୍ର ନାମକ ସମ୍ବାଦପତ୍ର ଆରମ୍ଭ କରି ସେ ତାହାର ପ୍ରକାଶକ ଓ ସମ୍ପାଦକ ମଧ୍ୟ ଥିଲେ । ସେ ନିଜ ଉଦ୍ୟମରେ କଟକରେ ଏକ ବେସରକାରୀ ସ୍କୁଲର ପ୍ରତିଷ୍ଠା କଲେ ଯାହା ପରବର୍ତ୍ତୀ ସମୟରେ ପ୍ୟାରୀମୋହନ ଏକାଡେମୀରେ ପରିଣତ ହୋଇଥିଲା । ଉତ୍କଳରେ ଇତିହାସ ଲିଖନର ଅଭାବ ଦେଖି ସେ ପୁରାତନ ରାଜକୀୟ ନଥି ଓ ମାଦଳା ପାଞ୍ଜି ଆଦି ଉପରେ ଗବେଷଣା କରି ଗୋଟିଏ ଓଡ଼ିଆ ଇତିହାସ ସଂକଳନ କରିଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ମୋହନ ସୁନ୍ଦର ଦେବ ଗୋସ୍ୱାମୀ (୧୮୯୨-୧୯୪୮) ଜଣେ ଓଡ଼ିଆ କବି, ଗାୟକ, ନାଟ୍ୟକାର, କଥାଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ଥିଲେ । ବିଂଶ ଶତାବ୍ଦୀରେ ଉତ୍କଳୀୟ ରାହାସର ସେ ଜଣେ ପ୍ରଧାନ ପ୍ରବର୍ତ୍ତକ ଓ ପ୍ରଚାରକ ଥିଲେ । ନିଜ କବିତ୍ୱ, ମଧୁର କଣ୍ଠ, ଅଭିନୟ ଓ ଶିକ୍ଷାଦ୍ୱାରା ସେ ରାସଦଳ ଗଢ଼ି ରାଧାକୃଷ୍ଣଙ୍କ ଲୀଳା ଅଭିନୀତ କରାଉଥିଲେ । ସେହି ସମୟରେ ଓଡ଼ିଶାର ଗ୍ରାମେ ଗ୍ରାମେ 'ମୋହନ ଗୋସେଇଁ' ନାମରେ ସୁପରିଚିତ ଥିଲେ ।
ହରପ୍ପା ( Punjabi pronunciation: [ɦəɽəppaː] ; ଉର୍ଦ୍ଦୁ / Punjabi ) ପାକିସ୍ତାନର ପଞ୍ଜାବର ଏକ ପ୍ରତ୍ନତାତ୍ତ୍ୱିକ ସ୍ଥାନ, ସାହିୱାଲର ପ୍ରାୟ 24 km (15 mi) ପଶ୍ଚିମରେ ଏହି ସାଇଟ୍ ରବି ନଦୀର ପୂର୍ବ ପଥ ନିକଟରେ ଅବସ୍ଥିତ । ରବି ନଦୀ ନିକଟରେ ଅବସ୍ଥିତ ଏକ ଆଧୁନିକ ଗାଁରୁ ଏହାର ନାମକରଣ ହୋଇଛି । ରବି ନଦୀ ବର୍ତ୍ତମାନ 8 km (5.0 mi) ଉତ୍ତରରେ ଚାଲୁଛି । ହରପ୍ପାର ପ୍ରାଚୀନ ସ୍ଥାନଟି ବର୍ତ୍ତମାନର ହରପ୍ପା ଗାଁରୁ 1 km (0.62 mi)ରୁ କମ୍ ଦୂରରେ ଅବସ୍ଥିତ । ଯଦିଓ ଆଧୁନିକ ହରପ୍ପା ବ୍ରିଟିଶ ରାଜ ସମୟରୁ ଏକ ପୁରୁଣା ରେଳ ଷ୍ଟେସନ ଅଛି, ଏହା ଆଜି ୧୫,୦୦୦ ଲୋକଙ୍କ ଏକ ଛୋଟ ଛକ ସହର ଅଟେ ।
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପ୍ୟୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ୱୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଭାରତୀୟ ପ୍ରବନ୍ଧ ଅନୁଷ୍ଠାନ ସମ୍ବଲପୁର
ଭାରତୀୟ ପ୍ରବନ୍ଧ ଅନୁଷ୍ଠାନ ସମ୍ବଲପୁର(ଇଂରାଜୀ : Indian Institute of Management Sambalpur) , ଏକ ସ୍ୱୟଂଶାସିତ ମ୍ୟାନେଜମେଣ୍ଟ ଶିକ୍ଷା ଅନୁଷ୍ଠାନ । ଏହା ଭାରତୀୟ ରାଜ୍ୟ ଓଡ଼ିଶାର ସମ୍ବଲପୁରଠାରେ ଅବସ୍ଥିତ । ୨୦୧୮-୨୦ ବ୍ୟାଚରେ ଗୋଟିଏ ମଧ୍ୟ ଝିଅ ଏହି ଅନୁଷ୍ଠାନରେ ନାମ ଲେଖାଇ ନଥିବା ବେଳେ, ୨୦୧୯-୨୧ ବ୍ୟାଚରେ ୯୮ଟି ସିଟ ମଧ୍ୟରୁ ୫୦ ଜଣ ଝିଅ ଥିଲେ । ଭାରତର ସମସ୍ତ ଆଇଆଇଏମ ମଧ୍ୟରୁ ଏହ ହାର ସର୍ବାଧିକ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.