ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସରୋଜିନୀ ସାହୁ ଜଣେ (ଜନ୍ମ ୧୯୫୬) ଭାରତୀୟ ଓଡ଼ିଆ-ଭାଷୀ ଔପନ୍ୟାସିକା, ଗାଳ୍ପିକା, କବି, ପ୍ରାବନ୍ଧିକା । ତାଙ୍କର ସାହିତ୍ୟ କୃତି ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମି ପୁରସ୍କାର ଓ ଶାରଳା ପୁରସ୍କାରରେ ସମ୍ମାନୀତ । ସେ ଜଣେ ଭାରତୀୟ ନାରୀବାଦୀ ଲେଖିକା ଭାବରେ ଜଣାଶୁଣା ଓ ଇଂରାଜୀ ଖବରକାଗଜ ଦି ନିଉ ଇଣ୍ଡିଆନ ଏକ୍ସପ୍ରେସର ନିୟମିତ ପ୍ରାବନ୍ଧିକା ଓ ଚେନ୍ନାଇରେ ଥିବା ଇଂରାଜୀ ପତ୍ରିକା ଇଣ୍ଡିଆନ ଏଜର ସହ-ସମ୍ପାଦିକା । ସେ କିଣ୍ଡଲେ ପତ୍ରିକା ଦ୍ୱାରାଭାରତର ୨୫ ଜଣ ଅସାଧାରଣ ନାରୀଙ୍କ ମଧ୍ୟରୁ ଜଣେ ଭାବେ ନିର୍ବାଚିତା ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ରବର୍ଟ୍ ଜନ୍ ଡାଓନି ଜୁନିୟର୍(ଜନ୍ମ ଅପ୍ରିଲ୍ ୪, ୧୯୬୫) ଜଣେ ଆମେରିକିୟ ଅଭିନେତା|ତାଙ୍କ ବୃତ୍ତି ଜୀବନ ଯୌବନ ସମୟରେ ସମାଲୋଚନା ମୂଳକ ଏବଂ ଜନପ୍ରିୟ ରହିଥିଲା ଏବଂ ଯାହାକି ଅପବ୍ୟବହାର ଏବଂ ଆଇନ ଅସୁବିଧା ମଧ୍ୟ ଏବଂ ମଧ୍ୟମ ବୟସରେ ବାଣିଜ୍ୟିକ ଉନ୍ନତି ଦେଇ ଗତି କରିଥିଲା। ୨୦୧୨ରୁ ୨୦୧୫ ପର୍ଯ୍ୟନ୍ତ ସେ ଲଗାତାର୍ ୩ ବର୍ଷ ପର୍ଯ୍ୟନ୍ତ ଡାଓନି ସବୁଠାରୁ ଅଧିକ ବେତନ ପାଉଥିବା ଅଭିନେତା ମାନଂକ ମଧ୍ୟରେ ଫୋର୍ବସ୍ର ସୂଚୀରେ ସବୁଠାରୁ ଉପରେ ଥିଲେ ,ଜୁନ୍ ୨୦୧୪ରୁ ଜୁନ୍୨୦୧୫ ମଧ୍ୟରେ ତାଙ୍କ ଅନୁମାନିକ ଆୟ ୮୦ ମିଲିୟନ୍ ଡଲାର୍ ଥିଲା|
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଆନନ୍ଦୀବେନ୍ ମଫତଭାଇ ପଟେଲ (ଜନ୍ମ ୨୧ ନଭେମ୍ବର ୧୯୪୧) ଜଣେ ଭାରତୀୟ ରାଜନେତା ଯିଏ ୨୦୧୯ ମସିହାରୁ ଉତ୍ତର ପ୍ରଦେଶର ୨୦ତମ ଏବଂ ବର୍ତ୍ତମାନର ରାଜ୍ୟପାଳ ଭାବରେ କାର୍ଯ୍ୟ କରୁଛନ୍ତି। ସେ ୨୦୨୦ ରୁ ୨୦୨୧ ପର୍ଯ୍ୟନ୍ତ ମଧ୍ୟପ୍ରଦେଶର ୧୭ତମ ରାଜ୍ୟପାଳ ଏବଂ ୨୦୧୮ ରୁ ୨୦୧୯ ପର୍ଯ୍ୟନ୍ତ ଛତିଶଗଡ଼ର ରାଜ୍ୟପାଳ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି। ସେ ଗୁଜରାଟର ପ୍ରଥମ ଏବଂ ବର୍ତ୍ତମାନର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ସେ ସରୋଜିନୀ ନାଇଡୁଙ୍କ ପରେ ଉତ୍ତର ପ୍ରଦେଶର ଦ୍ୱିତୀୟ ମହିଳା ରାଜ୍ୟପାଳ ଏବଂ ରାଜ୍ୟର ସବୁଠାରୁ ଦୀର୍ଘ ସମୟ ଧରି ରାଜ୍ୟପାଳ ଭାବରେ କାର୍ଯ୍ୟ କରୁଥିବା ରାଜ୍ୟପାଳ ଅଟନ୍ତି। ସେ ୧୯୮୭ ମସିହାରୁ ଭାରତୀୟ ଜନତା ପାର୍ଟି (ବିଜେପି) ର ସଦସ୍ୟ ଭାବେ କାର୍ଯ୍ୟରତ । ସେ ୨୦୦୨ ରୁ ୨୦୦୭ ମସିହା ପର୍ଯ୍ୟନ୍ତ ଶିକ୍ଷା କ୍ୟାବିନେଟ ମନ୍ତ୍ରୀ ଥିଲେ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସୁବାଷ ଚନ୍ଦ୍ର ପାଣିଗ୍ରାହୀ (ଜନ୍ମ: ୧୩ ଅଗଷ୍ଟ ୧୯୫୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୧୯୯୮ର ଉପ-ନିର୍ବାଚନ ଏବଂ ୨୦୦୦ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଦେବଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜେନିବେନ୍ ନାଗାଜିଭାଇ ଠାକୋର ଜଣେ ଭାରତୀୟ ରାଜନେତା ଏବଂ ଭାଭ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ଗୁଜରାଟ ବିଧାନସଭାର ବିଧାୟକ ଥିଲେ । ସେ ୨୦୧୭ ଗୁଜରାଟ ବିଧାନସଭା ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ଭାରତୀୟ ଜନତା ପାର୍ଟିର ଶଙ୍କର ଚୌଧୁରୀଙ୍କ ବିରୁଦ୍ଧରେ ବିଜୟୀ ହୋଇଥିଲେ । ସେ ୨୦୨୪ ଭାରତୀୟ ଲୋକସଭା ନିର୍ବାଚନରେ ବନାସକାଣ୍ଠା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇଥିଲେ, ଏବଂ ଗୁଜରାଟରୁ ଏକମାତ୍ର ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଥିଲେ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ୱାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପ୍ୟାରୀମୋହନ ଆଚାର୍ଯ୍ୟ (୫ ଅଗଷ୍ଟ ୧୮୫୧ - ୨୮ ଡିସେମ୍ବର ୧୮୮୧) ଜଣେ ଭାରତୀୟ ଐତିହାସିକ ଓ ସମ୍ପାଦକ ଥିଲେ । ପ୍ୟାରୀମୋହନ ୨୦ ବର୍ଷ ବୟସରୁ ମଧୁସୂଦନ ରାଓ ଓ ଗୋବିନ୍ଦ ରଥଙ୍କ ସହିତ ମିଶି ଓଡ଼ିଆରେ ଉତ୍କଳ ପୁତ୍ର ନାମକ ସମ୍ବାଦପତ୍ର ଆରମ୍ଭ କରି ସେ ତାହାର ପ୍ରକାଶକ ଓ ସମ୍ପାଦକ ମଧ୍ୟ ଥିଲେ । ସେ ନିଜ ଉଦ୍ୟମରେ କଟକରେ ଏକ ବେସରକାରୀ ସ୍କୁଲର ପ୍ରତିଷ୍ଠା କଲେ ଯାହା ପରବର୍ତ୍ତୀ ସମୟରେ ପ୍ୟାରୀମୋହନ ଏକାଡେମୀରେ ପରିଣତ ହୋଇଥିଲା । ଉତ୍କଳରେ ଇତିହାସ ଲିଖନର ଅଭାବ ଦେଖି ସେ ପୁରାତନ ରାଜକୀୟ ନଥି ଓ ମାଦଳା ପାଞ୍ଜି ଆଦି ଉପରେ ଗବେଷଣା କରି ଗୋଟିଏ ଓଡ଼ିଆ ଇତିହାସ ସଂକଳନ କରିଥିଲେ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲାହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ ।
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ସୁବାସ ରାଉତ (୧୯୫୬ - ୨୦୧୮) ଜଣେ ଓଡ଼ିଆ କଥାଚିତ୍ର ପ୍ରଯୋଜକ ଏବଂ ରାଜନୀତିଜ୍ଞ ଥିଲେ । ସେ ୧୯୮୮ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଚଳଚ୍ଚିତ୍ର ପ୍ରଯୋଜନା କ୍ଷେତ୍ରରେ ପ୍ରବେଶ କରିଥିଲେ ଏବଂ ପରେ ସେ ନିଜେ ସ୍ୱାଧୀନ ଭାବରେ ତାଙ୍କର ପ୍ରଥମ କଥାଚିତ୍ର ଭାଗ୍ୟ ହାତେ ଡୋରି ନିର୍ମାଣ କରିଥିଲେ । ସେ ସମୁଦାୟ ୯ଟି କଥାଚିତ୍ର ପ୍ରଯୋଜନା କରିଥିଲେ ଏବଂ ତାଙ୍କ ପ୍ରଯୋଜିତ ଶେଷ ଚଳଚ୍ଚିତ୍ର ଥିଲା ସନ୍ତାନ, ଯାହାକି ୧୯୯୮ ମସିହାରେ ମୁକ୍ତିଲାଭ କରିଥିଲା । ସୁବାସଙ୍କର ପ୍ରଜୋଜନାରେ ଇ ଟିଭି ଓଡ଼ିଆରେ ପ୍ରସାରିତ ଧାରାବାହିକ ତୁଳସୀ ନିର୍ମିତ ହୋଇଥିଲା ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.