ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ସାଧାରଣତଃ ଖରାବେଳେ ବା ଉପରଓଳି ପଖାଳ ଖିଆଯାଏ । ପଖାଳର ଲୋକାଦୃତି ଓ ପ୍ରସାର ଉଦ୍ଦେଶ୍ୟରେ ମାର୍ଚ୍ଚ ମାସ ୨୦ ତାରିଖକୁ ପଖାଳ ଦିବସ ଭାବେ ନାମିତ କରାଯାଇଛି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ପ୍ରବହମାନ ଜଳର ଯାନ୍ତ୍ରିକ ଶକ୍ତି ବା ଗଚ୍ଛିତ ଜଳର ସ୍ଥିତିଜ ଶକ୍ତି ବିଦ୍ୟୁତ୍ ଶକ୍ତିରେ ରୂପାନ୍ତରିତ ହେଲେ ତାହାକୁ ଜଳ ବିଦ୍ୟୁତ୍ । ଏକ ଆକଳନ ଅନୁସାରେ ୨୦୧୫ରେ ବିଶ୍ୱରେ ଉତ୍ପାଦିତ ସମସ୍ତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୧୬.୬% ଏବଂ ନବୀକରଣୀୟ ଉତ୍ସରୁ ଜାତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୭୦% ଅଂଶ ଜଳ ବିଦ୍ୟୁତରୁ ମିଳିଥାଏ । ଏହି ପରିମାଣ ପ୍ରତି ବର୍ଷ ହାରାହାରି ୩.୧% ହିସାବରେ ଏହା ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି । ୨୦୧୩ର ଏକ ଗଣନା ଅନୁସାରେ ବିଶ୍ୱର ପ୍ରାୟ ୧୫୦ଟି ଦେଶରେ ଜଳ ବିଦ୍ୟୁତ୍ ଉତ୍ପାଦନ କରାଯାଏ । ସମଗ୍ର ଜଳ ବିଦ୍ୟୁତର ପ୍ରାୟ ୩୩% ଏସିଆର ପ୍ରଶାନ୍ତ ମହାସାଗର ତଟବର୍ତ୍ତୀ ଦେଶମାନଙ୍କରୁ ମିଳେ । ତନ୍ମଧ୍ୟରୁ ଜଳ-ବିଦ୍ୟୁତ୍ ଉତ୍ପାଦନରେ ଚୀନ ପ୍ରଥମ ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମୀୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଟକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ୍ୟ ଓ ଅନ୍ତର୍ଲକ୍ଷ୍ୟ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ୍ୟ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପୀର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ଅଜନ୍ତା ଗୁମ୍ଫା (ଇଂରାଜୀରେ Ajanta Caves,ମରାଠୀ ଭାଷାରେ अजिंठा लेणी - ଅର୍ଥାତ୍ ଅଜିଣ୍ଠା ଗୁମ୍ଫା) ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଖ୍ରୀଷ୍ଟାବ୍ଦ ପଞ୍ଚମ ଶତାବ୍ଦୀ ମଧ୍ୟରେ ଭାରତରେ ନିର୍ମିତ ପ୍ରାୟ ୩୦ଟି ବୌଦ୍ଧ ଗୁମ୍ଫାକୁ ବୁଝାଇଥାଏ । ଏହି ଗୁମ୍ଫାଗୁଡ଼ିକ ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଲାରେ ଅବସ୍ଥିତ । ଏହି ଗୁମ୍ଫାମାନଙ୍କରେ ପ୍ରସ୍ତରକୁ କାଟି ନିର୍ମିତ ମୂର୍ତ୍ତି ସହିତ ଗୁମ୍ଫା କାନ୍ଥ ଓ ଛାତରେ ବହୁ ସୁନ୍ଦର ଚିତ୍ର ମଧ୍ୟ ଦେଖିବାକୁ ମିଳେ । ମୂର୍ତ୍ତିଗୁଡ଼ିକ ପ୍ରାଚୀନ ଭାରତୀୟ ସ୍ଥାପତ୍ୟ କଳାର ଜୀବନ୍ତ ଦୃଷ୍ଟାନ୍ତ ଏବଂ ଚିତ୍ରଗୁଡ଼ିକରେ ଭାବଭଙ୍ଗୀ ଅତି ନିଖୁଣ ଭାବରେ ପ୍ରକାଶିତ । ୟୁନେସ୍କୋ (UNESCO) ଅନୁସାରେ ଭାରତୀୟ କଳାକୁ ପ୍ରଭାବିତ କରିଥିବା ବୌଦ୍ଧ ଧାର୍ମିକ କଳାର ଏକ ଶ୍ରେଷ୍ଠ ଉଦାହରଣ ହେଉଛି ଅଜନ୍ତା । ଏହି ଗୁମ୍ଫାଗୁଡ଼ିକ ମୁଖ୍ୟତଃ ଦୁଇଟି ପର୍ଯ୍ୟାୟରେ ନିର୍ମିତ ହୋଇଥିଲା । ପ୍ରଥମ ନିର୍ମାଣ ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାବ୍ଦୀରୁ ଆରମ୍ଭ ହୋଇଥିଲା । ଦ୍ୱିତୀୟ ନିର୍ମାଣ ପାରମ୍ପରିକ ଲେଖା ଅନୁସାରେ ଖ୍ରୀ. ୪୦୦-୬୫୦ ମଧ୍ୟରେ ଓ ନୂତନ ଗବେଷକଙ୍କ ମତରେ ଖ୍ରୀ.
ବସନ୍ତ କୁମାର ଶତପଥୀ (୨୬ ଜୁନ ୧୯୧୩–୨୦ ଫେବୃଆରୀ ୧୯୯୪) ଜଣେ ଭାରତୀୟ ଶିକ୍ଷାବିଦ୍ ତଥା ଓଡ଼ିଆ ଗାଳ୍ପିକ, ଅନୁବାଦକ, ନାଟ୍ୟକାର ଓ ସମାଲୋଚକ ଥିଲେ । ସେ ୧୨ଟି ଗଳ୍ପ ସଂକଳନ ବ୍ୟତୀତ ଅନେକ ଅନୂଦିତ ପୁସ୍ତକ ତଥା ଏକ ଆତ୍ମଜୀବନୀ ପୁସ୍ତକ ରଚନା କରିଥିଲେ ଏବଂ ଜଣେ ପ୍ରମୁଖ ଉତ୍ତର ସ୍ୱାଧୀନତା ଲେଖକ । ତାଙ୍କ ଗଳ୍ପଗୁଡ଼ିକ ଝଙ୍କାର, ସମାବେଶ, ଆସନ୍ତାକାଲି ଇତ୍ୟାଦି ପତ୍ରିକାରେ ପ୍ରକାଶିତ ହୋଇଥିଲା । ସେ ନିଜ ରଚନାରେ ମୁଖ୍ୟତଃ ଶ୍ଳେଷ ଓ ହାସ୍ୟରସ ସହ ଗମ୍ଭୀର ଦୃଷ୍ଟିକୋଣ ସହ ଲେଖୁଥିଲେ । ତାଙ୍କ ଗଳ୍ପ ସଂକଳନ ସାହିତ୍ୟ ଅକାଦେମୀ, ନ୍ୟାସନାଲ୍ ବୁକ୍ଟ୍ରଷ୍ଟ ଓ ଭାରତୀୟ ଜ୍ଞାନପୀଠ ଦ୍ୱାରା ପ୍ରକାଶିତ ଏବଂ ଅନେକ ଗଳ୍ପ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ତଥା ମହାବିଦ୍ୟାଳୟ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଛି । ସେ ନିଜର ରଚନା ନିମନ୍ତର ଓଡ଼ିଶା ସାହିତ୍ୟ ଏକାଡେମୀ (୧୯୬୮), ବିଷୁବ ପୁରସ୍କାର (୧୯୭୯), ଶାରଳା ସମ୍ମାନ, ଉତ୍କଳ ସାହିତ୍ୟ ସମାଜ ସମ୍ମାନ ଆଦି ପୁରସ୍କାରରେ ସମ୍ମାନିତ । ଭାରତୀୟ ସାହିତ୍ୟ କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ପାଇଁ କେନ୍ଦ୍ର ସାହିତ୍ୟ ଅକାଦେମୀ ତରଫରୁ ଏକ ସଂକଳନ ପ୍ରକାଶିତ ହୋଇଛି ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ଼ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ପୁରୁଷ ହକି ବିଶ୍ୱକପର ୧୪ତମ ସଂସ୍କରଣ ଭୁବନେଶ୍ୱରରେସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଟିତ ହୋଇଥିଲା । ଏହି ପ୍ରତିଯୋଗିତା ୨୮ ନଭେମ୍ବରରୁ ୧୬ ଡିସେମ୍ବର ୨୦୧୮ ପର୍ଯ୍ୟନ୍ତ ଚାଲିଥିଲା । ଏହାର ଉଦଘାଟନ ଉତ୍ସବ ୨୭ ନଭେମ୍ବରରେ ଜାକ ଯମକର ସହ ସମାପ୍ତ ହୋଇଛି । ଉଦଘାଟନୀ ଉତ୍ସବରେ ଶାହରୁଖ ଖାନ, ମାଧୁରୀ ଦୀକ୍ଷିତ ଏବଂ ଏ.ଆର ରହମାନ ଯୋଗ ଦେଇଥିଲେ । ଏଥି ସହ ଭାରତର ସବୁଠାରୁ ବଡ଼ ଡ୍ରୋଣ ଉଡାଣ ପ୍ରଦର୍ଶିତ ହୋଇଥିଲା ।
ଶାହାରୁଖ ଖାଁ (ଜନ୍ମ ୨ ନଭେମ୍ବର ୧୯୬୫) ଭାରତର ସିନେ ଜଗତର ଜଣେ ଅଭିନେତା ଓ ପ୍ରଯୋଜକ । ସାଧାରଣତଃ "କିଙ୍ଗ୍ ଖାନ", "ଏସ.ଆର.କେ", "କିଙ୍ଗ ଅଫ୍ ବଲିଉଡ଼" ତଥା "ବଲିଉଡ଼ ବାଦଶାହ" ଭାବରେ ସେ ଜଣାଶୁଣା । ୧୯୯୨ ମସିହାରେ "ଦିୱାନା" ଚଳଚ୍ଚିତ୍ର ଜରିଆରେ ପଦାର୍ପଣ କରିଥିବା ଶାହାରୁଖ ତା' ଆଗରୁ ଟେଲିଭିଜନରେ ଜଣେ ଶ୍ରେଷ୍ଠ ଧାରାବାହିକ ଅଭିନେତା ଭାବରେ ନାଁ କରିଥିଲେ । ଶାହାରୁଖ ୧୪ଟି ଫିଲ୍ମଫେୟାର୍ ପୁରସ୍କାର ବର୍ତ୍ତମାନ ସୁଦ୍ଧା ଜିତିଛନ୍ତି, ଯହିଁରୁ ୮ ଗୋଟି ଶ୍ରେଷ୍ଠ ଅଭିନେତା ବିଭାଗରେ ଅଛି, ତଥା ଏହା ଏକ ରେକର୍ଡ଼ ଦିଲ୍ଲିପ କୁମାରଙ୍କ ସହିତ ।
ହ୍ୱାଟ୍ସଆପ କୁଶଳୀ ଦୂରଭାଷ ଯନ୍ତ୍ରରେ ଚାଲୁଥିବା ଏକ ପ୍ରସିଦ୍ଧ ତତ୍-କ୍ଷଣିକ ବାର୍ତ୍ତା ପ୍ରେରଣକାରୀ ସେବା । ଏହା ସାହାଯ୍ୟରେ ଇଣ୍ଟରନେଟ୍ ମାଧ୍ୟମରେ ଗୋଟିଏ ହ୍ୱାଟ୍ସଆପ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀଙ୍କ କୁଶଳୀ ଦୂରଭାଷ ଯନ୍ତ୍ରକୁ ଲେଖାଯାଇଥିବା ବାର୍ତ୍ତା ପଠାଇପାରନ୍ତି । ଏହା ସହିତ ଅଭିଲିଖିତ ବାର୍ତ୍ତା, ଛବି, ଭିଡିଓ ତଥା ନିଜର ଅବସ୍ଥିତି ମଧ୍ୟ ପଠାଇହୁଏ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ଓକିଲ, ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ଭାରତର ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବାରେ ତାଙ୍କର ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ" ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ଇସ୍ରାଏଲ-ପାଲେଷ୍ଟାଇନ ସଂଘର୍ଷ ଲେଭାଣ୍ଟରେ ଚାଲିଥିବା ସାମରିକ ଏବଂ ରାଜନୈତିକ ସଂଘର୍ଷ । ବିଂଶ ଶତାବ୍ଦୀର ମଧ୍ୟଭାଗରୁ ଆରମ୍ଭ ହୋଇଥିବା ଏହା ବିଶ୍ୱର ସବୁଠାରୁ ଲମ୍ବା ସଂଘର୍ଷ ମଧ୍ୟରୁ ଅନ୍ୟତମ । ଇସ୍ରାଏଲ-ପାଲେଷ୍ଟାଇନ ଶାନ୍ତି ପ୍ରକ୍ରିୟା ନାମରେ ଏହି ବିବାଦର ସମାଧାନ ପାଇଁ ବିଭିନ୍ନ ପ୍ରକାରର ପ୍ରୟାସ କରାଯାଇଛି । ୧୮୯୭ ମସିହାର ପ୍ରଥମ ଜିଓନିଷ୍ଟ କଂଗ୍ରେସ ଏବଂ ୧୯୧୭ର ବାଲଫୋର ଘୋଷଣାନାମା ସମେତ ପାଲେଷ୍ଟାଇନରେ ଏକ ଇହୁଦୀ ମାତୃଭୂମି ପାଇଁ ଦାବିର ସାର୍ବଜନୀନ ଘୋଷଣା ଇହୁଦୀ ପ୍ରବାସୀଙ୍କ ଲହର ପରେ ଏହି ଅଞ୍ଚଳରେ ପ୍ରାରମ୍ଭିକ ଉତ୍ତେଜନା ସୃଷ୍ଟି କରିଥିଲା । ପ୍ରଥମ ବିଶ୍ୱଯୁଦ୍ଧ ପରେ ପାଲେଷ୍ଟାଇନ ପାଇଁ ଆଦେଶରେ "ପାଲେଷ୍ଟାଇନରେ ଇହୁଦୀ ଲୋକଙ୍କ ପାଇଁ ଏକ ଜାତୀୟ ଗୃହ ପ୍ରତିଷ୍ଠା" ପାଇଁ ଏକ ବାଧ୍ୟତାମୂଳକତା ନିୟମ ଅନ୍ତର୍ଭୁକ୍ତ ହୋଇଥିଲା । ଇହୁଦୀ ଓ ଆରବମାନଙ୍କ ମଧ୍ୟରେ ଉତ୍ତେଜନା ଖୋଲା ସାମ୍ପ୍ରଦାୟିକ ସଂଘର୍ଷରେ ପରିଣତ ହୋଇଥିଲା। ପାଲେଷ୍ଟାଇନ ପାଇଁ ୧୯୪୭ ମସିହାରେ ମିଳିତ ଜାତିସଂଘବିଭାଜନ ଯୋଜନା କେବେ କାର୍ଯ୍ୟକାରୀ ହୋଇନଥିଲା ଏବଂ ୧୯୪୭-୧୯୪୯ ପାଲେଷ୍ଟାଇନ ଯୁଦ୍ଧକୁ ଉତ୍ତେଜିତ କରିଥିଲା । ବର୍ତ୍ତମାନର ଇସ୍ରାଏଲ-ପାଲେଷ୍ଟାଇନ ସ୍ଥିତାବସ୍ଥା ୧୯୬୭ ମସିହାରେ ପାଲେଷ୍ଟାଇନ ଅଞ୍ଚଳ ଭାବରେ ପରିଚିତ ୬ ଦିନିଆ ଯୁଦ୍ଧରେ ପଶ୍ଚିମ ତଟ ଏବଂ ଗାଜା ଉପରେ ଇସ୍ରାଏଲର ସାମରିକ ଦଖଲ ପରେ ଆରମ୍ଭ ହୋଇଥିଲା ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଚୀନ୍ , ଆନୁଷ୍ଠାନିକ ଭାବରେ ଚୀନ୍ ଗଣରାଜ୍ୟ (PRC) , ପୂର୍ବ ଏସିଆର ଏକ ଦେଶ । ୧.୪ ବିଲିୟନରୁ ଅଧିକ ଜନସଂଖ୍ୟା ସହିତ , ଏହା ଭାରତ ପରେ ଦ୍ୱିତୀୟ ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଦେଶ , ଯାହା ବିଶ୍ୱ ଜନସଂଖ୍ୟାର ୧୭.୪% ପ୍ରତିନିଧିତ୍ୱ କରେ । ଚୀନ୍ ବିଶାଳ ; ଏହା ପ୍ରାୟ ୯.୬ ନିୟୁତ ବର୍ଗ କିଲୋମିଟର ( ୩,୭୦୦,୦୦୦ ବର୍ଗ ମାଇଲ ) ଅଞ୍ଚଳ ପରିବ୍ୟାପ୍ତ ଚଉଦ ଦେଶକୁ ଭୂମି ଦ୍ୱାରା ସୀମାବଦ୍ଧ କରିଥାଏ , ଯାହା ଏହାକୁ ଭୂମି କ୍ଷେତ୍ର ଅନୁସାରେ ତୃତୀୟ ବୃହତ୍ତମ ଦେଶ କରିଥାଏ । ଦେଶଟି ୩୩ଟି ପ୍ରଦେଶ-ସ୍ତରୀୟ ବିଭାଗରେ ବିଭକ୍ତ : ୨୨ଟି ପ୍ରଦେଶ , ୫ଟି ସ୍ୱାୟତ୍ତ ଅଞ୍ଚଳ , ୪ଟି ପୌରପାଳିକା ଏବଂ ୨ଟି ଅର୍ଦ୍ଧ-ସ୍ୱାୟତ୍ତ ସ୍ୱତନ୍ତ୍ର ପ୍ରଶାସନିକ ଅଞ୍ଚଳ । ବେଜିଂ ( Beijing ) ଦେଶର ରାଜଧାନୀ , ଯେତେବେଳେ କି ସାଂଘାଇ ସହରାଞ୍ଚଳ ଅନୁସାରେ ଏହାର ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ସହର ଏବଂ ସର୍ବବୃହତ ଆର୍ଥିକ କେନ୍ଦ୍ର । ସଭ୍ୟତାର ଛଅଟି ଉଦ୍ଗମ ସ୍ଥଳ ମଧ୍ୟରୁ ଗୋଟିଏ ଭାବରେ ବିବେଚିତ ଚୀନ୍ , ପ୍ରାଚୀନପ୍ରସ୍ତର କାଳୀନ ସମୟରେ ଏହି ଅଞ୍ଚଳରେ ପ୍ରଥମ ମାନବ ବାସିନ୍ଦାଙ୍କ ଆଗମନ ଦେଖିଥିଲା । ଦ୍ୱିତୀୟ ସହସ୍ରାବ୍ଦ ଖ୍ରୀଷ୍ଟପୂର୍ବର ଶେଷ ସୁଦ୍ଧା , ପ୍ରାରମ୍ଭିକ ରାଜବଂଶୀୟ ରାଜ୍ୟଗୁଡ଼ିକ ୟେଲୋ ନଦୀ ( ହ୍ବାଙ୍ଗ୍-ହୋ ନଦୀ ) ଅବବାହିକାରେ ଆବିର୍ଭାବ ହୋଇଥିଲା । ଖ୍ରୀ. ପୂ. ଅଷ୍ଟମରୁ ତୃତୀୟ ଶତାବ୍ଦୀ ମଧ୍ୟରେ ଝୋଉ ( Zhou ) ବଂଶର ପ୍ରଭୁତ୍ୱର ପତନ ଘଟିଲା , ଯାହା ସହିତ ପ୍ରଶାସନିକ ଓ ସେନା ସମ୍ପର୍କୀୟ ପ୍ରଣାଳୀ , ସାହିତ୍ୟ , ଦାର୍ଶନିକତା ଓ ଇତିହାସଲେଖନର ଉଦୟ ହୋଇଥିଲା । ୨୨୧ ଖ୍ରୀ.
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।