ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରଘୁନାଥ ମହାନ୍ତି (ଜନ୍ମ: ୧୧ ନଭେମ୍ବର ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୯୦, ୧୯୯୫, ୨୦୦୦, ୨୦୦୪ ଓ ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବସ୍ତା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ, ୧୨ଶ, ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଚୈତ୍ରମାସ ଶୁକ୍ଳ ଅଷ୍ଟମୀ, ଅଶୋକାଷ୍ଟମୀ ନାମରେ ପରିଚିତ ଏବଂ ଏହି ଦିନର ଯାତ୍ରାର ରଥକୁ ରୁକୁଣା ରଥ ଯାତ୍ରା କହନ୍ତି । ବିଶେଷତଃ ଏହି ସମୟରେ ଦେବୀ ଦୁର୍ଗାଙ୍କ ବାସନ୍ତୀ ପୂଜା ଚାଲିଥାଏ । ସେହିପରି ଅଶୋକାଷ୍ଟମୀ ପରଦିନ ରାମ ନବମୀ ପାଳନ କରାଯାଏ । ରାମନବମୀ ପୂର୍ବଦିନ ଅଶୋକ ନାମ ଯୋଡ଼ିହୋଇ ଥିବାରୁ ରାମାୟଣର ଅଶୋକବନ କଥା ମନକୁ ଆସେ । ଏହିଦିନ ସୀତା ଅଶୋକ ଜଳପାନ କରି ଦୁଃଖ ଭୁଲିଯାଇଥିବାରୁ ସେହିଦିନଠାରୁ ଏହିଦିନଟି ପ୍ରସିଦ୍ଧ ହୋଇଛି ବୋଲି ଲୋକକଥା ରହିଛି । ଭେଷଜ ଶାସ୍ତ୍ରରୁ ଜଣାଯାଏ ଅଶୋକ ବୃକ୍ଷ ସ୍ତ୍ରୀଲୋକଙ୍କ ଉପକାରୀ । ବିଶେଷକରି ପୁନର୍ବସୁ ନକ୍ଷତ୍ରରେ ଏହା ସେବନ କଲେ ଅଧିକ ଫଳପ୍ରଦ ହୁଏ । କିଛିଲୋକଙ୍କ ମତରେ ରାବଣ ଜଣେ ବୈଜ୍ଞାନିକ ଥିଲା ଏବଂ ସ୍ତ୍ରୀଲୋକଙ୍କ ପ୍ରଧାନ ଋତୁଜନିତ ରୋଗ ନିରାକରଣ ନିମିତ୍ତ ଅଶୋକବନ ସୃଷ୍ଟି କରିଥିଲେ । ଏହି ବନରେ ସୀତାଙ୍କୁ ରଖିଲେ ତାଙ୍କର ଶାରୀରିକ ବିଶେଷତଃ ସ୍ତ୍ରୀରୋଗ ହେବନାହିଁ ବୋଲି ରାବଣ ସୀତାଙ୍କୁ ସେଠାରେ ରଖାଇଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭୁଲ୍ ବୁଝିବନି ମତେ, ୨୦୧୦ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଆଳୟ ମହାନ୍ତି ଏବଂ ରଚିତା ଷଡ଼ଙ୍ଗୀ । ଆଳୟ ମହାନ୍ତି ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଡଃ ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । କୁନାଲ ପଟ୍ଟନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କରମା ନାଚ ଏକ ଭାରତୀୟ ଆଦିବାସୀ ଲୋକନୃତ୍ୟ ଓ ପ୍ରାୟତଃ ଓଡ଼ିଶାର ସମ୍ବଲପୁର, ମୟୂରଭଞ୍ଜ, ଢେଙ୍କାନାଳ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ପାଳନ କରାଯାଏ । ଏହା କରମଶୁଣି (କରମ ଦେବୀ)ଙ୍କ ପୂଜା ପାଇଁ କରାଯାଇଥାଏ । ଭାଦ୍ରବ ଶୁକ୍ଲ ଏକାଦଶୀରେ ଏହା ଆରମ୍ଭ ହୋଇ କିଛି ଦିନ ପର୍ଯ୍ୟନ୍ତ ଚାଲିଥାଏ । ପୂଜା ଦିନ ଦୁଇ ଜଣ ଯୁବତୀ କନ୍ୟା କରମା ଗଛର ଡାଳକୁ ଆଣି ଦେବତାଙ୍କ ଆସ୍ଥାନରେ ରଖିଥାନ୍ତି । ଏହି କରମା ଡାଳକୁ କରମଶୁଣି ଦେବୀ ଭାବରେ ପୂଜା କରାଯାଏ । ଏହା ସହିତ ଅଙ୍କୁରିତ ଗଜା, ଘାସ ଫୁଲ ଏବଂ ଦେଶୀ ମଦ୍ୟ ମଧ୍ୟ ଦେବତୀଙ୍କୁ ଅର୍ପଣ କରାଯାଏ । ପୂଜା ପରେ ଯୁବକ ଯୁବତୀମାନେ ମାଦଳର ତାଳେ ତାଳେ ନୃତ୍ୟ କରିଥାନ୍ତି । ପ୍ରାୟତଃ ଏହି ନାଚରେ ଗୋଡ଼ ଏବଂ ବିଶେଷ କରି ପାଦର ବ୍ୟବହାର ଅଧିକ ହୁଏ । ଅଣ୍ଟାରେ ହାତ ଛନ୍ଦାଛନ୍ଦି ହୋଇ ଆଦିବାସୀ ଯୁବକ ଯୁବତୀମାନେ ନାଚ ଆରମ୍ଭ କରିଥାନ୍ତି । ନୃତ୍ୟ ମନ୍ଥର ଗତିରେ ଆରମ୍ଭ ହୋଇ ଧୀରେଧୀରେ ନାଚର ଗତି ଦ୍ରୁତତର ହୋଇଥାଏ । ଏହି ନୃତ୍ୟ ଗ୍ରାମ ଦେବତୀଙ୍କ ଆସ୍ଥାନ ନିକଟରେ ହୋଇଥାଏ ଏବଂ ରାତି ସାରା ଚାଲିଥାଏ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ନବଗୁଞ୍ଜର ସାରଳା ମହାଭାରତରେ ବର୍ଣ୍ଣିତ ଏକ ବିଚିତ୍ର ପ୍ରାଣୀ । ବର୍ଣ୍ଣନା ଅନୁସାରେ ଏହି ପ୍ରାଣୀ ନଅଗୋଟି ପଶୁପକ୍ଷୀଙ୍କ ଅଙ୍ଗର ଏକ ସମ୍ମିଶ୍ରଣ । ବିଷ୍ଣୁ ବା କୃଷ୍ଣଙ୍କ ଏକ ଅବତାର ଭାବେ ନବଗୁଞ୍ଜର ଗୃହୀତ । ନବଗୁଞ୍ଜରର ଚୂଳ ଓ ଶିର କୁକୁଡ଼ାର, ବେକ ମୟୂରର, ଗୋଟିଏ ଭୁଜ ମନୁଷ୍ୟର, ଗୋଟିଏ ପାଦ ହାତୀର, ଗୋଟିଏ ପାଦ ବାଘର, ଗୋଟିଏ ପାଦ ଘୋଡ଼ାର, ପିଠି ବୃଷଭର, କଟି ସିଂହର ଓ ଲାଞ୍ଜ ସାପର । ପଟ୍ଟଚିତ୍ରକାରଙ୍କ ପାଇଁ ନବଗୁଞ୍ଜର ଏକ ପ୍ରିୟ ବିଷୟ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ନାରାୟଣ ସାହୁ (ଜନ୍ମ ୨୫ ନଭେମ୍ବର ୧୯୫୫) ଜଣେ ଓଡ଼ିଆ ଅଧ୍ୟାପକ ଓ ନାଟ୍ୟକାର । ଏଯାବତ ତାଙ୍କର ୨୦ରୁ ଉର୍ଦ୍ଧ ନାଟକ ପ୍ରକାଶିତ ହୋଇସାରିଛି । ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ସେ ଅଧ୍ୟାପନା କରିଛନ୍ତି । ତାଙ୍କର ନାଟକ ଆଶ୍ରା ଖୋଜି ବୁଲୁଥିବା ଇଶ୍ୱର ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଆକାଶବାଣୀ ନାଟ୍ୟକାର ପୁରସ୍କାର, ଝଙ୍କାର ନାଟକ ପୁରସ୍କାର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଦାମୋଦାର ହୋତା ([d̪amod̪ɔɾɔ hot̪a] (listen);୨୫ ଡିସେମ୍ବର ୧୯୩୫- ୫ ଫେବୃଆରୀ ୨୦୨୨) ଜଣେ ପାରମ୍ପରିକ ଓଡ଼ିଶୀ ବା ଉଡ୍ରପଦ୍ଧତୀୟ ଶାସ୍ତ୍ରୀୟ ସଙ୍ଗୀତ ଓ ହିନ୍ଦୁସ୍ତାନୀ ସଙ୍ଗୀତ ଗାୟକ ଏବଂ ଗବେଷକ ଥିଲେ । ସେ ଆକାଶବାଣୀ କଟକ ଓ ଦୂରଦର୍ଶନ କେନ୍ଦ୍ର ଭୁବନେଶ୍ୱରର ଜଣେ ସ୍ୱୀକୃତିପ୍ରାପ୍ତ କଣ୍ଠଶିଳ୍ପୀ ଥିଲେ । ତାଙ୍କୁ ପଦ୍ମକେଶରୀ ଉପାଧିରେ ଭୂଷିତ କରାଯାଇଥିଲା । ସେ ଆଜୀବନ ଶିକ୍ଷାଦାନ, ଗବେଷଣା ଓ ଲେଖନୀ ଚାଳନାରେ ଲିପ୍ତ ଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମାଟିର ମଣିଷ, ୧୯୬୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବାବୁଲାଲ ଦୋଶୀ । ଏହି କଥାଚିତ୍ରଟି କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଉପନ୍ୟାସ "ମାଟିର ମଣିଷ" ଉପରେ ନିର୍ମାଣ କରାଯାଇଥିଲା । କାଳିନ୍ଦୀ ଚରଣ ଏହି ଉପନ୍ୟାସର ଚଳଚ୍ଚିତ୍ର ରୂପାନ୍ତରଣ ପାଇଁ ବାବୁଲାଲ ଦୋଶୀଙ୍କ ପାଖରେ ସର୍ତ୍ତ ରଖିଥିଲେ ଯେ, ସତ୍ୟଜିତ ରାୟ କିମ୍ବା ମୃଣାଳ ସେନ ଏହାର ନିର୍ଦ୍ଦେଶନା କରନ୍ତୁ । ସତ୍ୟଜିତ ରାୟଙ୍କ ସମୟ ଅଭାବରୁ, ବାବୁଲାଲ ମୃଣାଳ ସେନଙ୍କୁ ଏହାର ନିର୍ଦ୍ଦେଶନା ପାଇଁ ବାଛିଥିଲେ । ଗୋପାଳ ଛୋଟରାୟ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ଏହି ଚଳଚ୍ଚିତ୍ରଟି ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଭାବରେ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବମାନଙ୍କରେ ପ୍ରଦର୍ଶିତ ହେବାର ସୁଯୋଗ ପାଇଥିଲା ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଲୋକରତ୍ନ କୁଞ୍ଜବିହାରୀ ଦାଶ, (୭ ମାର୍ଚ୍ଚ ୧୯୧୪ - ୧୪ ମାର୍ଚ୍ଚ ୧୯୯୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଅଧ୍ୟାପକ, ଲେଖକ ଓ ଗବେଷକ ଥିଲେ । ତାଙ୍କର ଆମେରିକାରୁ ୟୁରୋପ୍ ଆଫ୍ରିକା ପୁସ୍ତକ ପାଇଁ ସେ ୧୯୬୫-୬୭ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ମୋ କାହାଣୀ ପାଇଁ ୧୯୭୯ କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର ପାଇଥିଲେ । କଲିକତା ଏକାଡେମୀ ଅଫ୍ ଫୋକଲୋର ତାଙ୍କୁ ୧୯୭୮ ମସିହାରେ "ଲୋକରତ୍ନ" ଉପାଧି ପ୍ରଦାନ କରିଥିଲା । ଜଣେ ସାରସ୍ୱତ ସଂଗଠକ ଭାବରେ ସେ ବହୁ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ଓକିଲ, ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ଭାରତର ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବାରେ ତାଙ୍କର ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ" ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଶୈଳବାଳା ଦାସ, (ଶୈଳବାଳା ହାଜରା୧୮୭୫-୧୯୬୮) ଜଣେ ସମାଜସେବୀ ଥିଲେ । ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ତାଙ୍କର ମୁଖ୍ୟ ଭୂମିକା ଥିଲା।ମଧୁସୂଦନ ଦାସ ତାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ । ସେ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ୦୩ ଅପ୍ରେଲ ୧୯୫୨ରୁ ୦୨ ଅପ୍ରେଲ ୧୯୫୪ ପର୍ଯ୍ୟନ୍ତ ରାଜ୍ୟ ସଭାର ସଭ୍ୟ ଭାବେ କାର୍ଯ୍ୟ କରିଥିଲେ । ଶୈଳବାଳା ମହିଳା ମହାବିଦ୍ୟାଳୟ ତାଙ୍କରି ନାମରେ ନାମିତ ହୋଇଛି ।
ଗୋପାଳବଲ୍ଲଭ ଦାସ (୨୩ ଡିସେମ୍ବର ୧୮୬୦ - ୧୯୧୪) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଏବଂ ବ୍ରିଟିଶ ଶାସନ ସମୟରେ ଓଡ଼ିଶା କମିଶନରଙ୍କର ସହାୟକ, ଡେପୁଟି ମାଜିଷ୍ଟେଟ ଓ ଗଡ଼ଜାତ ସମୂହର ସହାୟକ ସୁପୁରିଣ୍ଟେଣ୍ଡେଣ୍ଟ ଥିଲେ । ସେ ପ୍ରଧାନତଃ ଓଡ଼ିଆ ଉପନ୍ୟାସ, କବିତା ଓ ଅନୁବାଦ ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚିତ ଉପନ୍ୟାସ ଭୀମା ଭୂଇଁଆ ଥିଲା ଓଡ଼ିଆରେ ଲିଖିତ ପ୍ରଥମ ଜନଜାତି ଉପନ୍ୟାସ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଅସୀମା ପଣ୍ଡା ଜଣେ ଓଡ଼ିଆ କଣ୍ଠଶିଳ୍ପୀ । ସେ ମୁଖ୍ୟତଃ ଓଡ଼ିଆ ଏବଂ ସମ୍ବଲପୁରୀ ଗୀତ ଗାଆନ୍ତି । ଅସୀମା ଓଡ଼ିଆ ଆଲବମ୍, ଭଜନ ଓ କଥାଚିତ୍ର ଜଗତରେ ଜଣେ ଜଣାଶୁଣା ଗାୟିକା । ଅସୀମା ପଣ୍ଡା ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ଗାଇବା ଆରମ୍ଭ କରିଥିଲେ । ଓଡ଼ିଆ କଥାଚିତ୍ର ହରି ଓମ୍ ହରିରେ ସେ ପ୍ରଥମଥର ପାଇଁ ଓଡ଼ିଆ କଥାଚିତ୍ର ପାଇଁ ଗୀତ ଗାଇଥିଲେ ଏବଂ ଏହାପରେ ଗଞ୍ଜା ଲଢ଼େଇ, ୱାନ୍ ୱେ ଟ୍ରାଫିକ୍, ଗଞ୍ଜା ଲଢ଼େଇ, ଆଶିକ୍, ତୁ କହିବୁ ନା ମୁଁ, ତୁ ମୋର ସପନ ରାଣୀ, ପ୍ରେମର ନିଶା ନିଆରା ନିଆରା, ମୁଁ ପରଦେଶୀ ଚଢ଼େଇ, ତୁ ମୋ ସୁନା ଚଢ଼େଇ, ଫ୍ରମ୍ ମି ଟୁ ୟୁ, ଟାଇଗର, ଲଭ୍ ଟୁଇଷ୍ଟ, ମୁଁ ଖାଣ୍ଟି ଓଡ଼ିଆ ଝିଅ, ତୋ ପ୍ରେମରେ ପଡ଼ିଲା ପରେ, ଏମିତି ବି ହେଇପାରେ, ଅଭିମାନ, ମୁଇଁ ଦିୱାନା ତୁଇ ଦିୱାନୀ, ତୁ ମୋ ହିରୋ, ଅଦୃଶ୍ୟମ୍, ବାପା ତମେ ଭାରି ଦୁଷ୍ଟ, ଦେଲେ ଧରା କଥା ସରେ, ସୀତାରାମଙ୍କ ବାହାଘର କଳିଯୁଗରେ, ସେଲଫିସ୍ ଦିଲ୍, ଏକ୍ସକ୍ୟୁଜ ମି, ଲୋକାଲ ଟୋକା ଲଭ୍ ଚୋଖା, ପ୍ୟାର ଅଲଗା ପ୍ରକାର, ଲଭ୍ ଏକ୍ସପ୍ରେସ୍, ଟିକେ ଅନାଡ଼ି ପୂରା ଖିଲାଡ଼ି, ନାୟକର ନାଁ ଦେବଦାସ, ମିଠା ମିଠା, ଲୈଲା ଓ ଲୈଲା, ହାପି ଲକି, ହେଲୋ- ଇନ୍ ଲଭ୍, ଟୋକାଟା ଫସିଗଲା, ଯୋଗୀ, ବିଶ୍ୱରୂପ ଆଦି କଥାଚିତ୍ରରେ କଣ୍ଠଦାନ କରିଥିଲେ । ଅସୀମା ଓଡ଼ିଆ କଥାଚିତ୍ର ବ୍ୟତୀତ ବିଭିନ୍ନ ଆଲବମ୍ ଗୀତ ଏବଂ ଭଜନରେ କଣ୍ଠଦାନ କରିଛନ୍ତି । ପ୍ରାର୍ଥନା ଟିଭିରେ ପ୍ରସାରିତ ଭଜନ ଅନ୍ତାକ୍ଷରୀ, ପ୍ରାର୍ଥନା ମଞ୍ଚ ଭଳି କାର୍ଯକ୍ରମରେ ଭଜନ ପରିବେଷଣ କରନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଆଠଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଆଠଗଡ଼ (କ୍ରମିକ ସଂଖ୍ୟା: ୮୯) କଟକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।