ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଚନ୍ଦ୍ର ପୃଥିବୀର ଚାରିପଟେ ଘୁରୁଥାଏ, ପୃଥିବୀ ସୂର୍ଯ୍ୟର ଚାରିପଟେ ଘୁରୁଥାଏ , ଏହିପରି ଘୂର୍ଣ୍ଣନ ପ୍ରକ୍ରିୟା ଅହରହ ଚାଲିଥାଏ । ଯେଉଁ ଦିନ ଚନ୍ଦ୍ର, ପୃଥିବୀ ଆଉ ସୂର୍ଯ୍ୟ ଏକା ସରଳ ରେଖାରେ ଅବତୀର୍ଣ୍ଣ କରନ୍ତି ଏବଂ ସୂର୍ଯ୍ୟ ଓ ଚନ୍ଦ୍ର ମଧ୍ୟରେ ପୃଥିବୀ ଅବସ୍ଥାନ କରେ ସେହି ଦିନ ସୂର୍ଯ୍ୟଙ୍କଠାରୁ ଆସୁଥିବା ଆଲୋକ ଚନ୍ଦ୍ରଙ୍କ ପାଖରେ ପହଞ୍ଚି ପାରେ ନାହିଁ ଏବଂ ସେହି ସମୟରେ ପୃଥିବୀର ଛାଇ ଚନ୍ଦ୍ରଙ୍କ ଉପରେ ପଡେ ସେହି ସମୟରେ ଚନ୍ଦ୍ର ଲାଲ୍ ଦେଖାଯାଆନ୍ତି , ସେହି ସମୟକୁ ଚନ୍ଦ୍ରଗ୍ରହଣ ବୋଲି କୁହାଯାଏ । ଏହା କେବଳ ପୂର୍ଣିମା ତିଥୀରେ ହୋଇଥାଏ !
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ନୀତା କଦମ (ଦେବନାଗରୀ: नीता कदम; ଜନ୍ମ: ୯ ଡିସେମ୍ବର ୧୯୬୧) ଜଣେ ପୂର୍ବତନ ଭାରତୀୟ ମହିଳା କ୍ରିକେଟ୍ ଖେଳାଳି ଅଟନ୍ତି। ସେ ଡାହାଣହସ୍ତ ବ୍ୟାଟର୍ ଭାବେ ଖେଳୁଥିଲେ ଏବଂ ୧୯୮୫ ମସିହାରେ ଭାରତୀୟ ମହିଳା କ୍ରିକେଟ୍ ଦଳ ପାଇଁ ଟେଷ୍ଟ ଓ ଏକଦିନିଆ ଆନ୍ତର୍ଜାତୀୟ (ଓଡିଆଇ) ମ୍ୟାଚ୍ରେ ଅଂଶଗ୍ରହଣ କରିଥିଲେ। ସେ ଭାରତ ପାଇଁ ଟେଷ୍ଟ କ୍ୟାପ୍ ସଂଖ୍ୟା ୩୦ ଏବଂ ଓଡିଆଇ କ୍ୟାପ୍ ସଂଖ୍ୟା ୨୯ ପ୍ରାପ୍ତ କରିଥିଲେ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ମନମୋହନ ସାମଲ (ଜନ୍ମ: ୧୫ ଅପ୍ରେଲ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହି ବିଧାନ ସଭାରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
କ୍ରିକେଟ ଏକ ଖେଳର ନାମ ଯାହା ବ୍ୟାଟ ଏବଂ ବଲକୁ ନେଇ ୧୧ଜଣ ବିଶିଷ୍ଟ ଦୁଇ ଦଳ ଏକ କ୍ରିକେଟ ପଡ଼ିଆରେ ଖେଳନ୍ତି ଓ ପ୍ରତି ଦଳରେ ୧୧ ଜଣ ଖେଳାଳୀଙ୍କୁ ନେଇ ଖେଳାଯାଇଥାଏ । ପଡ଼ିଆର ମଧ୍ୟ ଭାଗରେ ୨୨ଗଜ ବିଶିଷ୍ଟ ଏକ ଆୟତ୍ତାକାର କ୍ଷେତ୍ର ଥାଏ ଯାହାକୁ ପିଚ୍ କୁହାଯାଏ । ଏହାର ଦୁଇ ମୁଣ୍ଡରେ ତିନୋଟି କରି କାଠ ନିର୍ମିତ ବାଡ଼ି ପୋତା ଯାଇଥାଏ ଯାହାକୁ ଉଇକେଟ କହନ୍ତି ଯେଉଁଥିରେ ତିନୋଟି ସ୍ଟମ୍ପ ଥାଏ । ପ୍ରତି ଉଇକେଟ ଆଗରେ ଗୋଟିଏ କରି କ୍ରିଜ ଥାଏ । ଦୁଇ ଦଳ ମଧ୍ୟରୁ ଗୋଟିଏ ଦଳକୁ ବ୍ୟାଟିଙ୍ଗ ଦଳ ଓ ଅନ୍ୟଟିକୁ କ୍ଷେତ୍ରରକ୍ଷକ ଦଳ କୁହାଯାଏ । ଏଥିରେ ଗୋଟିଏ ଦଳ ପ୍ରଥମେ ବ୍ୟାଟିଂ କରି ଅଧିକରୁ ଅଧିକ ଦୌଡ(Run) ସ୍କୋର କରିବାକୁ ଚେଷ୍ଟା କରିବା ବେଳେ, ଦ୍ୱିତୀୟ ଦଳ ବୋଲିଂ ତଥା କ୍ଷେତ୍ରରକ୍ଷଣ (ଫିଲ୍ଡିଂ | Fielding) କରିଥାନ୍ତି । ବ୍ୟାଟିଂ କରୁଥିବା ଦଳର ସମସ୍ତ ଖେଳାଳୀ ଆଉଟ କିମ୍ବା ଏକ ନିର୍ଦ୍ଧାରିତ ଓଭରର ବୋଲିଂ ଶେଷ ହେବା ପରେ ଦ୍ୱିତୀୟ ଦଳ ବ୍ୟାଟିଂ କରି, ପ୍ରଥମ ଦଳ ସ୍କୋର କରିଥିବା ଦୌଡ (Run)କୁ ହାସିଲ କରିବାକୁ ଚେଷ୍ଟା କରିଥାନ୍ତି । ଖେଳର ପରିଣାମ ସର୍ବାଧିକ ଦୌଡ(Run) ଉପରେ ନିର୍ଭର କରିଥାଏ । ବର୍ତ୍ତମାନ ଭାରତର ସବୁଠାରୁ ଲୋକପ୍ରିୟ ଖେଳ ହେଲା କ୍ରିକେଟ । ବର୍ତ୍ତମାନ କ୍ରିକେଟ ତିନୋଟି ଫର୍ମାଟରେ ଖେଳା ଯାଊଛି, ଯଥା ଟେଷ୍ଟକ୍ରିକେଟ, ଏକ ଦିବସୀୟ ବା ୱନ୍ ଡେ କ୍ରିକେଟ ଏବଂ ଟ୍ୱେଣ୍ଟି ଟ୍ୱେଣ୍ଟି କ୍ରିକେଟ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ନବନୀତ କୌର ରାଣା (ଜନ୍ମ ୬ ଏପ୍ରିଲ ୧୯୮୫), ଯିଏ ନବନୀତ ରବି ରାଣା ବୋଲି ମଧ୍ୟ ପରିଚିତ, ଜଣେ ଭାରତୀୟ ରାଜନୀତିଜ୍ଞା ଓ ପୂର୍ବତନ ଅଭିନେତ୍ରୀ । ସେ ପ୍ରଧାନତଃ ତେଲୁଗୁ ସିନେମାରେ କାମ କରିଥିବା ପାଇଁ ପରିଚିତ। ସେ ୨୦୧୯ ଲୋକସଭା ନିର୍ବାଚନରେ ଅମରାବତୀ ନିର୍ବାଚନମଣ୍ଡଳୀରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ୨୦୨୪ ନିର୍ବାଚନରେ ସେ ସେହି ଆସନରୁ ଭାରତୀୟ ଜନତା ପାର୍ଟି (ବିଜେପି) ଟିକେଟ୍ରେ ପ୍ରତିଯୋଗିତା କରିଥିଲେ, କିନ୍ତୁ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବଲୱନ୍ତ ୱାଙ୍ଖେଡେଙ୍କ ବିପକ୍ଷରେ ୧୯,୭୩୧ ମତାନ୍ତରରେ ପରାଜିତ ହୋଇଥିଲେ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପାୟଲ ଘୋଷ (ଜନ୍ମ ୧୩ ନଭେମ୍ବର ୧୯୮୯) ଜଣେ ଭାରତୀୟ ବଲିଉଡ୍ ଚଳଚ୍ଚିତ୍ର ଅଭିନେତ୍ରୀ। ସେ ହିନ୍ଦୀ, ବଙ୍ଗାଳୀ ଓ ତେଲୁଗୁ ଭାଷାର ଚଳଚ୍ଚିତ୍ରରେ କାର୍ଯ୍ୟ କରିଛନ୍ତି। ସେ କଲିକତାର ସେଇଣ୍ଟ ପାଉଲସ ମିଶନ ସ୍କୁଲରେ ଶିକ୍ଷା ଗ୍ରହଣ କରିଥିଲେ ଏବଂ ସ୍କଟିସ ଚର୍ଚ୍ଚ କଲେଜରୁ ରାଜନୀତି ବିଜ୍ଞାନରେ ଅନର୍ସ ସ୍ନାତକ ଡିଗ୍ରୀ ଲାଭ କରିଥିଲେ। ବର୍ତ୍ତମାନ ସେ ମୁମ୍ବାଇରେ ବସବାସ କରୁଛନ୍ତି ଏବଂ କାର୍ଯ୍ୟରତ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ସୌର ଜଗତରେ ଚନ୍ଦ୍ର ପୃଥିବୀର ଚାରିପଟେ ଘୁରୁଥାଏ ଏବଂ ପୃଥିବୀ ସୂର୍ଯ୍ୟର ଚାରିପଟେ ଘୁରୁଥାଏ । ଏହି ଘୂର୍ଣ୍ଣନ ପ୍ରକ୍ରିୟା ଅହରହ ଚାଲୁଥିବା ବେଳେ ଯେଉଁ ଦିନ ଚନ୍ଦ୍ର ଘୁରୁଥିବା ଅବସ୍ଥାରେ ପୃଥିବୀ ଆଉ ସୂର୍ଯ୍ୟ ମଧ୍ୟରେ ଏକ ସରଳ ରେଖାରେ ଅବତୀର୍ଣ୍ଣ କରେ ସେହି ଦିନ ସୂର୍ଯ୍ୟଙ୍କଠାରୁ ଆସୁଥିବା ଆଲୋକର କିଛି ଅଂଶ ଚନ୍ଦ୍ରଙ୍କଦ୍ୱାରା ଆଛାଦିତ ହୋଇ ପୃଥିବୀ ପୃଷ୍ଠରେ ଛାୟା ସୃଷ୍ଟି କରେ ସେହି ସମୟରେ ସୂର୍ଯ୍ୟ ଅଂଶିକ ବା ସଂପୂର୍ଣ୍ଣ ଭାବେ ଚନ୍ଦ୍ରଦ୍ୱାରା କିଛି ସମୟ ପାଇଁ ଆଛାଦିତ ବା ଘୋଡାଇ ହୋଇଯାଆନ୍ତି । ଭୌତିକ ବିଜ୍ଞାଣା ଦୃଷ୍ଟିରେ ଏହି ଭଳି ମହା ଜାଗତୀୟ ଘଟଣାକୁ ସୌରପରାଗ ବୋଲି କୁହାଯାଏ । ଏହା କେବଳ ଅମାବାସ୍ୟା ତିଥୀରେ ସମ୍ଭବ ହୋଇଥାଏ !
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଆବୁଆ ଭାଷା, (ଯାହା: ଆବୁଆନ ବୋଲି ମଧ୍ୟ ପରିଚିତ), ପଶ୍ଚିମ ଆଫ୍ରିକାର ନାଇଜେରିଆର ରିଭରସ୍ ଷ୍ଟେଟ୍ ରେ କଥିତ ଏକ ମୂଳ ଭାଷା ଅଟେ । ଏହି ଭାଷା ନାଇଜର–କଙ୍ଗୋ ଭାଷା ପରିବାରର ସେଣ୍ଟ୍ରାଲ୍ ଡେଲ୍ଟା ଶାଖାର ଅଂଶ ଅଟେ ଏବଂ ଏହାର ISO 639-3 କୋଡ୍ “abn” ଅଟେ । ଆବୁଆ ଭାଷା ଏହି ଅଞ୍ଚଳର ଆବୁଆ ଜନଜାତି ଲୋକମାନଙ୍କ ମୁଖ୍ୟ ଭାଷା ଭାବେ ବ୍ୟବହୃତ ହୁଏ ଓ ସେମାନଙ୍କର ସାମାଜିକ ଓ ସାଂସ୍କୃତିକ ପରିଚୟର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିକ ଅଟେ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲାହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଆବୁରେ ଭାଷା (ଯାହା ଆବୋରେ, ଆବୁଲେ, ଆକାପ୍ଲାସ୍ ଏବଂ ଆବୋନୱା ନାମରେ ମଧ୍ୟ ପରିଚିତ), ପଶ୍ଚିମ ଆଫ୍ରିକାରେ କଥିତ ଏକ ଆଫ୍ରିକୀୟ ଭାଷା ଅଟେ । ଏହାର ISO 639-3 କୋଡ୍ “abu” ଅଟେ । ଆବୁରେ ଭାଷା ପ୍ରାଧାନତଃ Côte d’Ivoire (ଆଇଭୋରି କୋଷ୍ଟ) ରେ ବସବାସ କରୁଥିବା ଆବୁ ଜନଜାତି ସମୁଦାୟ ଦ୍ୱାରା କଥିତ ହୁଏ । ଏହା ସେହି ସମୁଦାୟର ସାମାଜିକ ପରିଚୟ ଓ ସାଂସ୍କୃତିକ ଐତିହ୍ୟର ଏକ ମୁଖ୍ୟ ଅଂଶ ଅଟେ ।
ମାଳତୀ ଚୌଧୁରୀ (୨୬ ଜୁଲାଇ ୧୯୦୪ - ୧୫ ମାର୍ଚ୍ଚ ୧୯୯୮) ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ମାଳତୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ୱକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ । ସ୍ୱାଧୀନତା ସଂଗ୍ରାମର ପ୍ରଜାମଣ୍ଡଳ ଆନ୍ଦୋଳନରେ ସେ ଏତେ ମାତ୍ରାରେ ଜଡ଼ିତ ଥିଲେ ଇଂରେଜ ସରକାର ତାଙ୍କୁ "ଜୋଆନ୍ ଅଫ୍ ଆର୍କ" ନାମେର ସମ୍ବୋଧନ କରୁଥିଲେ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଆବେ ଭାଷା, (ଯାହାକୁ ଆବେ, ଆବେୟ କିମ୍ବା ଆବି ବୋଲି ମଧ୍ୟ ଲେଖାଯାଏ), ପଶ୍ଚିମ ଆଫ୍ରିକାରେ କଥିତ ଏକ ଆଫ୍ରିକୀୟ ଭାଷା ଅଟେ । ଏହା ପ୍ରମୁଖତଃ Côte d’Ivoire (ଆଇଭୋରୀ କୋଷ୍ଟ) ରେ କଥାହୁଅନ୍ତି।ଆବେ ଭାଷାରେ କଥା ହେଉଥିବା ଲୋକମାନଙ୍କୁ ସାଧାରଣତଃ “ଆବେ ଜନଜାତି” ବୋଲି କୁହାଯାଏ । ଏହି ଭାଷା ସେହି ଅଞ୍ଚଳର ସାମାଜିକ, ସାଂସ୍କୃତିକ ଓ ପାରମ୍ପରିକ ପରିଚୟର ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ବଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ୱାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲୀ କୁକୁର, ଭାରତୀୟ ଜଙ୍ଗଲୀ କୁକୁର, ହ୍ୱିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ୱାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ଦିଲିପ କୁମାର ରାୟ (ଜନ୍ମ: ୯ ଜାନୁଆରୀ ୧୯୫୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର ଏବଂ ରାଜ୍ୟ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫, ୧୯୯୦ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଉରକେଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ, ୧୦ମ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୬ ମସିହାରୁ ୨୦୦୨ ପର୍ଯ୍ୟନ୍ତ ସେ ରାଜ୍ୟସଭାର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
କଟକ, କଟକ ଜିଲ୍ଲାର ମୁଖ୍ୟାଳୟ ହେବା ସହିତ ଓଡ଼ିଶାର ଉପ-ରାଜଧାନୀ ତଥା ତତ୍ ସହିତ ରାଜ୍ୟର ସର୍ବପୁରାତନ ନଗର ମଧ୍ୟ । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ପାଖରେ ଭୁବନେଶ୍ୱର, ପୁରୀ ଓ କୋଣାର୍କର ଅଛି । ୧୯୬୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ମୀରା ସାନ୍ୟାଲ (ଜନ୍ମନାମ: ମୀରା ହିରାନନ୍ଦାନୀ; ୧୫ ଅକ୍ଟୋବର ୧୯୬୧ – ୧୧ ଜାନୁଆରୀ ୨୦୧୯) ଜଣେ ଭାରତୀୟ ବ୍ୟାଙ୍କର୍ ଓ ରାଜନୀତିଜ୍ଞା ଥିଲେ। ସେ ଭାରତରେ ରୋୟାଲ୍ ବ୍ୟାଙ୍କ ଅଫ୍ ସ୍କଟଲ୍ୟାଣ୍ଡ (RBS)ର ସିଇଓ ଓ ଅଧ୍ୟକ୍ଷା ଭାବେ କାର୍ଯ୍ୟ କରିଥିଲେ। ସେ ଉଚ୍ଚ ସମ୍ମାନିତ ନୌସେନା ଅଧିକାରୀ ଉପାଧ୍ୟକ୍ଷ (ଭାଇସ୍ ଆଡମିରାଲ୍) ଗୁଲାବ ମୋହନଲାଲ ହିରାନନ୍ଦାନୀଙ୍କ କନ୍ୟା ଥିଲେ। ବ୍ୟାଙ୍କିଂ କ୍ଷେତ୍ରରେ ୩୦ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବା ପରେ ସେ ୨୦୧୩ ମସିହାରେ RBS ରୁ ପଦତ୍ୟାଗ କରି ୨୦୧୪ ଲୋକସଭା ନିର୍ବାଚନରେ ଦକ୍ଷିଣ ମୁମ୍ବାଇରୁ ଆମ୍ ଆଦମୀ ପାର୍ଟି ପ୍ରାର୍ଥୀ ଭାବେ ପ୍ରତିଯୋଗିତା କରିଥିଲେ, କିନ୍ତୁ ପରାଜିତ ହୋଇଥିଲେ। ଏହାପୂର୍ବରୁ ସେ ୨୦୦୯ ଲୋକସଭା ନିର୍ବାଚନରେ ମୁମ୍ବାଇ ଦକ୍ଷିଣ ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିଥିଲେ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।