ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
କରଣମାନେ ମୁଖ୍ୟତଃ ଓଡ଼ିଶାରେ ବାସକରୁଥିବା ଏକ ଭାରତୀୟ ହିନ୍ଦୁ କ୍ଷତ୍ରିୟ ଜାତି । କରଣ ପଦବୀ ଏକ ବୃତ୍ତିଗତ ପଦବୀ ଥିଲା ଯାହା କଠୋର ହିନ୍ଦୁ ବର୍ଣ୍ଣ ଓ ଜାତିପ୍ରଥା ସାମାଜିକ ବିଭାଜନରେ ଉଚ୍ଚରେ ଥିବା କ୍ଷତ୍ରିୟ ଜାତିଦ୍ୱାରା ଦଖଲ କରାଯାଇଥିଲା । ସେମାନେ ଆନ୍ଧ୍ର ପ୍ରଦେଶର କେତେକ ସ୍ଥାନରେ କରଣମ ପଦବୀରେ ମଧ୍ୟ ରହିଥିଲେ ଓ ପଶ୍ଚିମବଙ୍ଗ ଏବଂ ବିହାରର କାୟସ୍ଥ ପରି ଓଡ଼ିଶାରେ ସମାନ ଭୂମିକା ଗ୍ରହଣ କରିଥିଲେ । ପାରମ୍ପାରିକ ଭାବରେ ସେମାନେ ଓଡ଼ିଆ ରାଜକୀୟ ରାଜ୍ୟଗୁଡ଼ିକର ଦରବାରରେ ସରକାରୀ ରେକର୍ଡ ରକ୍ଷକ ତଥା ଜମିଦାର, ଶିକ୍ଷକ, ରାଜା, ସୈନ୍ୟବାହିନୀରେ ମୁଖ୍ୟ ସେନାପତି ଓ ମନ୍ତ୍ରୀ ଆଦି ପଦବୀ ଅଧିକାର କରିଥିଲେ। ବର୍ତ୍ତମାନ ସମୟରେ ସେମାନେ ଏକ ରାଜନୈତିକ ପ୍ରଭାବଶାଳୀ ସମ୍ପ୍ରଦାୟ ଏବଂ ୫୦ ବର୍ଷରୁ ଉର୍ଦ୍ଧ ସମୟ ଧରି ଓଡ଼ିଶା ରାଜନୀତିରେ ନେତୃତ୍ତ୍ୱ ସ୍ଥାନ ଅଧିକାର କରିଛନ୍ତି ।
କ୍ରେଡିଟ କାର୍ଡ଼ ବା ବାକି କାର୍ଡ ଏକ ଛୋଟ ପ୍ଲାଷ୍ଟିକ କାର୍ଡ ଅଟେ । ଏହି କାର୍ଡଦ୍ୱାରା ଜିନିଷପତ୍ର କିଣିଲେ ଆଗ ପଇସା ଦେବାକୁ ପଡେନାହିଁ । ପ୍ରଥମେ ବାକିରେ ଏହି କାର୍ଡ଼ଧାରୀ ଜିନିଷ କିଣି ପରେ ଏହାର ମୂଲ୍ୟ ଦେଇପାରିବେ । ଏହି କାର୍ଡଦ୍ୱାରା ଏଟିଏମ କିମ୍ବା ବ୍ୟାଙ୍କରୁ ନଗଦ ଅର୍ଥ ମଧ୍ୟ ଉଠାଯାଇ ପାରେ । କିଣିଥିବା ଜିନିଷର ପଇସା ସଠିକ ସମୟରେ ଦେଇନପାରିଲେ ଉଚ୍ଚ ହାରରେ ସୁଧ ସହିତ ମୂଳ ଦେବାକୁ ପଡ଼ିଥାଏ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଉତ୍କଳ ବିଶ୍ୱବିଦ୍ୟାଳୟ ଓଡ଼ିଶାର ସର୍ବ ପୁରାତନ ତଥା ଭାରତର ସତରତମ ପୁରାତନ ବିଶ୍ୱବିଦ୍ୟାଳୟ ଅଟେ। ବାଣୀ ବିହାର ଭାବେ ପରିଚିତ ଏହାର ୩୯୯.୯ ଏକର ପରିମିତ ଏହାର ପରିସରଟି ଭୁବନେଶ୍ୱରର କେନ୍ଦ୍ରସ୍ଥଳରେ ଅବସ୍ଥିତ। ଏହି ବିଶ୍ୱବିଦ୍ୟାଳୟରେ ନିଜସ୍ୱ ଶିକ୍ଷା ବ୍ୟବସ୍ଥା ଥିବା ସାଙ୍ଗରେ ଅନ୍ୟ ବହୁ ମହାବିଦ୍ୟାଳୟ ଅନୁବନ୍ଧିତ ଭାବେ ରହିଛନ୍ତି। ଏବେ ଏହି ବିଶ୍ୱବିଦ୍ୟାଳୟରେ ୨୭ଟି ସ୍ନାତକୋତ୍ତର ବିଭାଗ ବିଜ୍ଞାନ, କଳା ଓ ବାଣିଜ୍ୟ କ୍ଷେତ୍ରରେ ଶିକ୍ଷାଦାନ କରୁଛନ୍ତି । ଏହାଛଡା ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷା ନିର୍ଦ୍ଦେଶାଳୟ, ଆଇନଶିକ୍ଷା ମହାବିଦ୍ୟାଳୟ ଓ ବହୁ ସେଲ୍ଫ ଫାଇନାନ୍ସ ବିଭାଗ ମଧ୍ୟ ଅଛି । ସମ୍ପ୍ରତି ବିଭିନ୍ନ ସ୍ନାତକୋତ୍ତର ବିଭାଗରେ ପ୍ରାୟ ୩୦୦୦ରୁ ଅଧିକ ଛାତ୍ର ପଢୁଛନ୍ତି। ଗତ ଅଡ଼ଷଠି ବର୍ଷଧରି ବାଣୀବିହାର ଶିକ୍ଷା କ୍ଷେତ୍ରରେ ଯୋଗଦାନ କରିଆସୁଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଶ୍ରୀରଙ୍ଗ ନାୟକ ବୃତ୍ତିରେ ଶିକ୍ଷକ ହେଲେ ବି ଜଣେ ନାଟ୍ୟକାର, ଲେଖକ ତଥା ଇତିହାସ ସମ୍ପର୍କିତ ସଂଗ୍ରାହକ । ରାୟଗଡ଼ା ଜିଲ୍ଲାର ଅନନ୍ୟ ଅନୁଷ୍ଠାନ "ଆଦିକନ୍ଦ ସଂଗ୍ରହାଳୟ"ର ସେ ପ୍ରତିଷ୍ଠାତା । ୨୦୧୫ ମସିହାରେ ତାଙ୍କର ସାହିତ୍ୟିକ କୃତି ନିମନ୍ତେ ସେ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ସମ୍ବର୍ଦ୍ଧିତ ହୋଇଛନ୍ତି । ରାୟଗଡ ଜିଲ୍ଲା ସାଂସ୍କୃତିକ ମହୋତ୍ସୱ 'ଚଇତି'ଦ୍ୱାରା ତାଙ୍କୁ 'ଚଇତି ସମ୍ମାନ'ରେ ସମ୍ମାନିତ କରାଯାଇଛି ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ପାତାଳୀ ଶ୍ରୀକ୍ଷେତ୍ର ସୋନପୁର ଜିଲ୍ଲା ତଥା ଓଡ଼ିଶାର ଏକ ପ୍ରସିଦ୍ଧ ଐତିହାସିକ ମହତ୍ୱପୂର୍ଣ୍ଣ ଧାର୍ମିକ ସ୍ଥଳ । ବିଶ୍ୱାସ କରାଯାଏ ଯେ, ଏଠାରେ ଥିବା ଗୁମ୍ଫାରେ ମହାପ୍ରଭୁ ଜଗନ୍ନାଥ, ସୁଭଦ୍ରା ଓ ବଳଭଦ୍ର ୧୪୪ ବର୍ଷ ପାତାଳି ହୋଇ ରହିଥିଲେ। ଏହା ସୋନପୁର ଜିଲ୍ଲାର ସଦର ମହକୁମା ଉତ୍ତର ପଶ୍ଚିମ ଦିଗ କୋଟ ସମଲାଇ ଗ୍ରାମ ନିକଟ ତ୍ରିକୂଟ ପାହାଡ଼ରେ ଅବସ୍ଥିତ । ଏହା ସୋନପୁର ଜିଲ୍ଲାର ବୀରମହାରାଜପୁର ସବଡିଭିଜନ ଅନ୍ତର୍ଗତ । ଚାରିଆଡ଼େ ପାହାଡ଼ ଘେରି ହୋଇ ରହିଥିବାରୁ ଏହା ଏକ ଉପତ୍ୟକା ଭଳି ମନେ ହୁ ଏ । ଶତ୍ରୁ ସେ ସ୍ଥାନକୁ ଯିବାକୁ ହେଲେ ଅତିକ୍ରମ କରିବାକୁ ପଡ଼େ ଅନେକ ପ୍ରାକୃତିକ ପ୍ରତିବନ୍ଧକ । ତତ୍କାଳୀନ ସୋନପୁର ରାଜାଙ୍କ ରାଣୀ ଏହି ସ୍ଥାନକୁ ଅତ୍ୟନ୍ତ ନିରାପଦ ମଣି ସେଇ ପାହାଡ଼ ଦେହରେ ଗୁମ୍ଫାମାନ ନିର୍ମାଣ କରିଥିଲେ ଓ ଯବନ ଶତ୍ରୁମାନଙ୍କ ଭୟରୁ ରକ୍ଷା ପାଇବା ପାଇଁ ବିପଦ ସମୟରେ ପରିବାରର ଲୋକେ ଏଠାରେ ଆଶ୍ରୟ ନେଉଥିଲେ । ଅନେକେ ବିଶ୍ୱାସ କରନ୍ତି ଏହି ଗୁମ୍ଫାମାନଙ୍କରେ ଅନେକ ଧନରତ୍ନ ଲୁକ୍କାୟିତ ଅବସ୍ଥାରେ ଅଛି । ସେଇ ଗୁମ୍ଫାଗୁଡ଼ିକରେ ମୁନିଋଷିମାନେ ରହି ପୂଜା କରିଆସୁଛନ୍ତି । ସେଇ ପାହାଡ଼କୁ ଲାଗି ରହିଛି ଧୋଇଆ ବନ୍ଧ ପାହାଡ଼ । ସେଇ ପାହାଡ଼ରେ ମଧ୍ୟ ଅନେକ ଗୁମ୍ଫା ଦେଖାଯାଏ । ତ୍ରିକୂଟ ପାହାଡ଼ର ଠିକ୍ ପଶ୍ଚିମ ଦିଗକୁ ଅଛି ଚନ୍ଦନ ଖୋଲ । ଏହି ଖୋଲ ନିକଟରେ ଥିବା ଗୋଟିଏ ବଡ଼ ଆମ୍ବଗଛ ମୂଳରୁ ଝରଣାଟିଏ ବାହାରିଛି । ଏହି ସ୍ଥାନର ମାଟି ଚନ୍ଦନ ଭଳିଆ ବାସ୍ନା ହେଉଥିବାରୁ ଏହାକୁ ଚନ୍ଦନ ଖୋଲ ବୋଲି ଲୋକମାନେ କହନ୍ତି । ସେଇ ଚନ୍ଦନ ଖୋଲ ନିକଟରେ ଅଛି ତାଳ ଖୋଲ । ଏଠାରେ ପଥରର ଏକ ବଡ଼ ମଣ୍ଡପ ରହିଛି । ଏହି ମଣ୍ଡପରେ ଏକ ସଙ୍ଗେ ୩୦/୪୦ ଜଣ ବସି ପାରିବେ । କୁହାଯାଏ ଯେ ଏଠାରେ ପାତାଳୀ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଭଜନ କୀର୍ତ୍ତନ କରାଯାଇଥିଲା । ସେଇ ପାହାଡ଼ରେ ଥିବା ଗୁମ୍ଫାଗୁଡ଼ିକୁ ସ୍ଥାନୀୟ ଲୋକମାନେ ବିଭିନ୍ନ ନାମରେ ନାମକରଣ କରିଛନ୍ତି, ଯଥା- ମାଧବ ଗୁମ୍ଫା ଧନା ଗୁମ୍ଫା, ରାଣୀ ଖୋଲଗୁମ୍ଫା, ଦାରୁକୋଣ ଗୁମ୍ଫା ଇତ୍ୟାଦି । ଦାରୁକୋଣ ଗୁମ୍ଫାରେ ହିଁ ବଳଭଦ୍ର, ଜଗନ୍ନାଥ ଓ ସୁଭଦ୍ରାଙ୍କୁ ପାତାଳୀ କରାଯାଇଥିଲା ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ନାରାୟଣ ସାହୁ (ଜନ୍ମ ୨୫ ନଭେମ୍ବର ୧୯୫୫) ଜଣେ ଓଡ଼ିଆ ଅଧ୍ୟାପକ ଓ ନାଟ୍ୟକାର । ଏଯାବତ ତାଙ୍କର ୨୦ରୁ ଉର୍ଦ୍ଧ ନାଟକ ପ୍ରକାଶିତ ହୋଇସାରିଛି । ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ସେ ଅଧ୍ୟାପନା କରିଛନ୍ତି । ତାଙ୍କର ନାଟକ ଆଶ୍ରା ଖୋଜି ବୁଲୁଥିବା ଇଶ୍ୱର ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଆକାଶବାଣୀ ନାଟ୍ୟକାର ପୁରସ୍କାର, ଝଙ୍କାର ନାଟକ ପୁରସ୍କାର ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଭାରତୀ ସିଂହ (ଜନ୍ମ ୩ ଜୁଲାଇ ୧୯୮୪) ଜଣେ ଭାରତୀୟ ହାସ୍ୟ କଳାକାର, ଅଭିନେତ୍ରୀ, ହୋଷ୍ଟ ଏବଂ ଟେଲିଭିଜନ୍ ବ୍ୟକ୍ତିତ୍ୱ ଅଟନ୍ତି, ଯିଏ ପ୍ରଧାନତଃ ହିନ୍ଦୀ ସିନେମାରେ କାମ କରନ୍ତି। ସେ ରିଆଲିଟି ଶୋ Jhalak Dikhhla Jaa 5 (୨୦୧୨), Nach Baliye 8 (୨୦୧୭) ଏବଂ Fear Factor: Khatron Ke Khiladi 9 (୨୦୧୯)ରେ ଅଂଶଗ୍ରହଣ କରିଥିଲେ । ୨୦୧୯ ମସିହାରେ ସେ Khatra Khatra Khatra ନାମକ ଏକ ନୂତନ ଶୋରେ ଦେଖା ଦେଇଥିଲେ, ଯାହାକି ସେ ତାଙ୍କ ସ୍ୱାମୀ ହାର୍ଶ ଲିମ୍ବାଚିଆଙ୍କ ସହ ମିଶି Colors TV ପାଇଁ ଅବଧାରଣା କରିଥିଲେ । ୨୦୧୬ ଠାରୁ ସିଂହ Forbes Indiaର ସେଲିବ୍ରିଟି ୧୦୦ ତାଲିକାରେ ନିୟମିତ ଭାବେ ସ୍ଥାନ ପାଇଆସୁଛନ୍ତି।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ବିଶ୍ୱଜିତ ଦାସ (୧୯୩୬-୨୦୦୪) ଜଣେ ଖ୍ୟାତନାମା ଓଡ଼ିଆ ନାଟ୍ୟକାର ଥିଲେ । ସେ ପ୍ରିୟତମା ଓ ନିଝୁମ ରାତିର ସାଥୀ କଥାଚିତ୍ରର ନିର୍ଦ୍ଦେଶନା ଦେବା ସହ ଗୌରୀ, ନାଗଫାସ, ଅହଲ୍ୟା, କାବେରୀ ଓ ତୁଣ୍ଡବାଇଦ ଆଦି କଥାଚିତ୍ରର ସଂଳାପ ରଚନା କରିଥିଲେ । ଏଥି ସହିତ ସେ କେତୋଟି ବିଦେଶୀ ଭାଷାର ନାଟକକୁ ଓଡ଼ିଆରେ ଅନୁବାଦ ମଧ୍ୟ କରିଥିଲେ । ୧୯୬୪ ମସିହାରେ 'ସଂକେତ' ନାମକ ଏକ ନାଟ୍ୟ ଅନୁଷ୍ଠାନ ଗଠନ କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଅଶ୍ୱିନୀ କୁମାର ଘୋଷ (୧୮୯୨-୧୯୬୨) ଜଣେ ଭାରତୀୟ ଓଡ଼ିଆ-ଭାଷୀ ନାଟ୍ୟକାର, ଗୀତିକାର ଓ ଔପନ୍ୟାସିକ ଥିଲେ । ସେ ପ୍ରାୟ ଏକଚାଳିଶଟି ଓଡ଼ିଆ ନାଟକ ରଚନା କରିଥିଲେ । ଏଥିମଧ୍ୟରୁ ପାଞ୍ଚଟି ପୌରାଣିକ ଓ କିମ୍ବଦନ୍ତୀଭିଭିକ । ସେ ଉଭୟ ଓଡ଼ିଆ ଉପନ୍ୟାସ ଓ ନାଟ୍ୟ ରଚନା କ୍ଷେତ୍ରରେ ନୂତନ ଶୈଳୀର ପ୍ରୟୋଗ ପାଇଁ ସେ ଜଣାଶୁଣା । ତାଙ୍କ ରଚିତ ଲୋକପ୍ରିୟ ମଞ୍ଚନାଟକ ମଧ୍ୟରେ ରଘୁ ଅରକ୍ଷିତ, ବନ୍ଧୁ ମହାନ୍ତି, ଚଣ୍ଡାଳୁଣୀ, ଶ୍ରୀଲୋକନାଥ ଓ ଚଷାଝିଅ ଆଦି ଅନ୍ୟତମ । ସେ ରଚନା କରିଥିବା ଚଳଚ୍ଚିତ୍ର କାହାଣୀ ମଧ୍ୟରେ ସେ ତୃତୀୟ ଓଡ଼ିଆ ଚଳଚ୍ଚିତ୍ର ଶ୍ରୀ ଜଗନ୍ନାଥ (୧୯୫୦) ଓ ଶ୍ରୀ ଲୋକନାଥ ( ୧୯୬୦) ଅନ୍ୟତମ । ସେ ଶ୍ରୀ ଜଗନ୍ନାଥର ଗୀତ ମଧ୍ୟ ରଚନା କରିଥିଲେ ଯାହା ତାଙ୍କ ଏକମାତ୍ର ଗୀତି ରଚନା । କାର୍ତ୍ତିକ କୁମାର ଘୋଷ ସାନଭାଇ ଓ ଗୌରୀଶଙ୍କର ରାୟ ତାଙ୍କର ବଡ଼ ଅଜା ଓ ରାମଶଙ୍କର ରାୟ ତାଙ୍କର ସାନ ଅଜା ଥିଲେ ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରାଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢ଼ି ରଖିଦେଲି କିଏ ପଚାରିବ ମୂଲ !
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ରାଖୀ ଗୁଲଜାର (ଜନ୍ମ: ୧୫ ଅଗଷ୍ଟ, ୧୯୪୭) ହିନ୍ଦୀ ଚଳଚ୍ଚିତ୍ରର ଜଣେ ପ୍ରସିଦ୍ଧ ଅଭିନେତ୍ରୀ। ସେ ସାଧାରଣତଃ କେବଳ ରାଖୀ ନାମରେ ପରିଚିତ। ସେ ପ୍ରଧାନତଃ ହିନ୍ଦୀ ଚଳଚ୍ଚିତ୍ରରେ କାମ କରିଥିବା ସହ ଅନେକ ବଙ୍ଗାଳୀ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି। ଚାରି ଦଶକ ଧରି ତାଙ୍କର ଅଭିନୟ ଜୀବନରେ ସେ ଅନେକ ପୁରସ୍କାର ସହିତ ତିନୋଟି ଫିଲ୍ମଫେୟାର ପୁରସ୍କାର ଏବଂ ଗୋଟିଏ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଜିତିଛନ୍ତି। ଫିଲ୍ମଫେୟାରରେ ରାଖୀଙ୍କୁ ୧୬ ଥର (ସର୍ବଶ୍ରେଷ୍ଠ ଅଭିନେତ୍ରୀ ପାଇଁ ୮ ଥର ଏବଂ ସର୍ବଶ୍ରେଷ୍ଠ ସହାୟକ ଅଭିନେତ୍ରୀ ପାଇଁ ୮ ଥର) ନାମାଙ୍କନ କରାଯାଇଛି, ଯାହା ତାଙ୍କୁ ମାଧୁରୀ ଦୀକ୍ଷିତ ଏବଂ ରାଣୀ ମୁଖାର୍ଜୀଙ୍କ ସହିତ ମହିଳା ବର୍ଗରେ ସର୍ବାଧିକ ନାମାଙ୍କିତ ଶିଳ୍ପୀମାନଙ୍କ ମଧ୍ୟରେ ଅନ୍ୟତମ ହେବାର ଗୌରବ ପ୍ରଦାନ କରିଛି।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଅସୀମା ପଣ୍ଡା ଜଣେ ଓଡ଼ିଆ କଣ୍ଠଶିଳ୍ପୀ । ସେ ମୁଖ୍ୟତଃ ଓଡ଼ିଆ ଏବଂ ସମ୍ବଲପୁରୀ ଗୀତ ଗାଆନ୍ତି । ଅସୀମା ଓଡ଼ିଆ ଆଲବମ୍, ଭଜନ ଓ କଥାଚିତ୍ର ଜଗତରେ ଜଣେ ଜଣାଶୁଣା ଗାୟିକା । ଅସୀମା ପଣ୍ଡା ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ଗାଇବା ଆରମ୍ଭ କରିଥିଲେ । ଓଡ଼ିଆ କଥାଚିତ୍ର ହରି ଓମ୍ ହରିରେ ସେ ପ୍ରଥମଥର ପାଇଁ ଓଡ଼ିଆ କଥାଚିତ୍ର ପାଇଁ ଗୀତ ଗାଇଥିଲେ ଏବଂ ଏହାପରେ ଗଞ୍ଜା ଲଢ଼େଇ, ୱାନ୍ ୱେ ଟ୍ରାଫିକ୍, ଗଞ୍ଜା ଲଢ଼େଇ, ଆଶିକ୍, ତୁ କହିବୁ ନା ମୁଁ, ତୁ ମୋର ସପନ ରାଣୀ, ପ୍ରେମର ନିଶା ନିଆରା ନିଆରା, ମୁଁ ପରଦେଶୀ ଚଢ଼େଇ, ତୁ ମୋ ସୁନା ଚଢ଼େଇ, ଫ୍ରମ୍ ମି ଟୁ ୟୁ, ଟାଇଗର, ଲଭ୍ ଟୁଇଷ୍ଟ, ମୁଁ ଖାଣ୍ଟି ଓଡ଼ିଆ ଝିଅ, ତୋ ପ୍ରେମରେ ପଡ଼ିଲା ପରେ, ଏମିତି ବି ହେଇପାରେ, ଅଭିମାନ, ମୁଇଁ ଦିୱାନା ତୁଇ ଦିୱାନୀ, ତୁ ମୋ ହିରୋ, ଅଦୃଶ୍ୟମ୍, ବାପା ତମେ ଭାରି ଦୁଷ୍ଟ, ଦେଲେ ଧରା କଥା ସରେ, ସୀତାରାମଙ୍କ ବାହାଘର କଳିଯୁଗରେ, ସେଲଫିସ୍ ଦିଲ୍, ଏକ୍ସକ୍ୟୁଜ ମି, ଲୋକାଲ ଟୋକା ଲଭ୍ ଚୋଖା, ପ୍ୟାର ଅଲଗା ପ୍ରକାର, ଲଭ୍ ଏକ୍ସପ୍ରେସ୍, ଟିକେ ଅନାଡ଼ି ପୂରା ଖିଲାଡ଼ି, ନାୟକର ନାଁ ଦେବଦାସ, ମିଠା ମିଠା, ଲୈଲା ଓ ଲୈଲା, ହାପି ଲକି, ହେଲୋ- ଇନ୍ ଲଭ୍, ଟୋକାଟା ଫସିଗଲା, ଯୋଗୀ, ବିଶ୍ୱରୂପ ଆଦି କଥାଚିତ୍ରରେ କଣ୍ଠଦାନ କରିଥିଲେ । ଅସୀମା ଓଡ଼ିଆ କଥାଚିତ୍ର ବ୍ୟତୀତ ବିଭିନ୍ନ ଆଲବମ୍ ଗୀତ ଏବଂ ଭଜନରେ କଣ୍ଠଦାନ କରିଛନ୍ତି । ପ୍ରାର୍ଥନା ଟିଭିରେ ପ୍ରସାରିତ ଭଜନ ଅନ୍ତାକ୍ଷରୀ, ପ୍ରାର୍ଥନା ମଞ୍ଚ ଭଳି କାର୍ଯକ୍ରମରେ ଭଜନ ପରିବେଷଣ କରନ୍ତି ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ବିଭୂତି ଭୂଷଣ ହରିଚନ୍ଦନ (ଜନ୍ମ: ୩ ଫେବୃଆରୀ ୧୯୪୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ବିଭୂତି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୨୦୦୦, ୨୦୦୪ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଚିଲିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ବସନ୍ତ କୁମାର ଶତପଥୀ (୨୬ ଜୁନ ୧୯୧୩–୨୦ ଫେବୃଆରୀ ୧୯୯୪) ଜଣେ ଭାରତୀୟ ଶିକ୍ଷାବିଦ୍ ତଥା ଓଡ଼ିଆ ଗାଳ୍ପିକ, ଅନୁବାଦକ, ନାଟ୍ୟକାର ଓ ସମାଲୋଚକ ଥିଲେ । ସେ ୧୨ଟି ଗଳ୍ପ ସଂକଳନ ବ୍ୟତୀତ ଅନେକ ଅନୂଦିତ ପୁସ୍ତକ ତଥା ଏକ ଆତ୍ମଜୀବନୀ ପୁସ୍ତକ ରଚନା କରିଥିଲେ ଏବଂ ଜଣେ ପ୍ରମୁଖ ଉତ୍ତର ସ୍ୱାଧୀନତା ଲେଖକ । ତାଙ୍କ ଗଳ୍ପଗୁଡ଼ିକ ଝଙ୍କାର, ସମାବେଶ, ଆସନ୍ତାକାଲି ଇତ୍ୟାଦି ପତ୍ରିକାରେ ପ୍ରକାଶିତ ହୋଇଥିଲା । ସେ ନିଜ ରଚନାରେ ମୁଖ୍ୟତଃ ଶ୍ଳେଷ ଓ ହାସ୍ୟରସ ସହ ଗମ୍ଭୀର ଦୃଷ୍ଟିକୋଣ ସହ ଲେଖୁଥିଲେ । ତାଙ୍କ ଗଳ୍ପ ସଂକଳନ ସାହିତ୍ୟ ଅକାଦେମୀ, ନ୍ୟାସନାଲ୍ ବୁକ୍ଟ୍ରଷ୍ଟ ଓ ଭାରତୀୟ ଜ୍ଞାନପୀଠ ଦ୍ୱାରା ପ୍ରକାଶିତ ଏବଂ ଅନେକ ଗଳ୍ପ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ତଥା ମହାବିଦ୍ୟାଳୟ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଛି । ସେ ନିଜର ରଚନା ନିମନ୍ତର ଓଡ଼ିଶା ସାହିତ୍ୟ ଏକାଡେମୀ (୧୯୬୮), ବିଷୁବ ପୁରସ୍କାର (୧୯୭୯), ଶାରଳା ସମ୍ମାନ, ଉତ୍କଳ ସାହିତ୍ୟ ସମାଜ ସମ୍ମାନ ଆଦି ପୁରସ୍କାରରେ ସମ୍ମାନିତ । ଭାରତୀୟ ସାହିତ୍ୟ କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ପାଇଁ କେନ୍ଦ୍ର ସାହିତ୍ୟ ଅକାଦେମୀ ତରଫରୁ ଏକ ସଂକଳନ ପ୍ରକାଶିତ ହୋଇଛି ।