ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
କ୍ରାନ୍ତିରେଖା (Tropics) ଦୁନିଆର ଏପରି ଏକ କଟିବନ୍ଧ ଅଟେ ଯାହା ଭୂମଧ୍ୟ ରେଖାରୁ ଅକ୍ଷାଂଶ ୨୩°୨୬'୧୬" ଉତ୍ତରରେ କର୍କ ରେଖା ଏବଂ ଅକ୍ଷାଂଶ ୨୩°୨୬'୧୬" ଦକ୍ଷିଣରେ ମକର ରେଖା ପର୍ଯ୍ୟନ୍ତ ସୀମିତ । କର୍କ ଏବଂ ମକର ରେଖାରେ ଏକ ସୂର୍ଯ୍ୟ ବର୍ଷରେ ଗୋଟିଏ ଥର ଏମାନଙ୍କ ମଝିର ପୁରା କ୍ଷେତ୍ରରେ ଏକ ସୂର୍ଯ୍ୟ ବର୍ଷରେ ଦୁଇଥର ସୂର୍ଯ୍ୟ ଠିକ ମୁଣ୍ଡ ଉପରେ ହୋଇଥାନ୍ତି । ବିଶ୍ୱ ଲୋକସଂଖ୍ୟାର ଏକ ବଡ଼ ଭାଗ (ପାଖାପାଖି ୪୦℅) ଏହି କ୍ଷେତ୍ରରେ ରହିଥାଏ ଏବଂ ଏହା ଅନୁମାନିତ ହୁଏକି ବଢୁଥିବା ଜନସଂଖ୍ୟା କାରଣରୁ ଏହି ଲୋକସଂଖ୍ୟା ଆହୁରି ବଢିଯିବ । ଏହା ପୃଥିବୀର ସବୁଠାରୁ ଗରମ କ୍ଷେତ୍ର ଅଟେ କାରଣ, ଅକ୍ଷୀୟ ନଇଁବା କାରଣରୁ ସୂର୍ଯ୍ୟର ଅଧିକତମ ଉଷ୍ମ ଭୂମଧ୍ୟ ରେଖା ଏବଂ ଏହାର ଆଖ-ପାଖର ଅଞ୍ଚଳରେ କେନ୍ଦ୍ରିତ ହୋଇଥାଏ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସାକ୍ଷୀ ଅଗ୍ରୱାଲ (ଜନ୍ମ ୨୦ ଜୁଲାଇ ୧୯୮୫) ଜଣେ ଭାରତୀୟ ଅଭିନେତ୍ରୀ ଏବଂ ମଡେଲ୍, ଯିଏ ମୁଖ୍ୟତଃ ତାମିଳ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। କାର୍ଯ୍ୟଜୀବନର ଆରମ୍ଭରେ ସେ ଜଣେ ମାର୍କେଟିଙ୍ଗ ପରାମର୍ଶଦାତା ଭାବେ କାମ କରୁଥିଲେ। ପରେ ସେ ଅଭିନୟ କ୍ଷେତ୍ରକୁ ପ୍ରବେଶ କରିଥିଲେ ଏବଂ ଆଂଶିକ ମଡେଲିଂ କାମ ମାଧ୍ୟମରେ ଲୋକପ୍ରିୟତା ଲାଭ କରିଥିଲେ। ଏହା ପରେ ସେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରମାନେରେ ବିଭିନ୍ନ ମୁଖ୍ୟ ଓ ସହାୟକ ଭୂମିକାରେ ଅଭିନୟ କରିଛନ୍ତି। ସେ ତାମିଲ ରିଏଲିଟି ଟେଲିଭିଜନ କାର୍ଯ୍ୟକ୍ରମ ବିଗ୍ ବସ୍ ୩ ରେ ମଧ୍ୟ ପ୍ରତିଯୋଗୀ ଥିଲେ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଗୌରୀଶଙ୍କର ରାୟ ଜଣେ ଓଡ଼ିଆ ଭାଷା ଆନ୍ଦୋଳନକାରୀ, ଲେଖକ ଓ ପ୍ରକାଶକ । ସେ ଉନବିଂଶ ଶତାବ୍ଦୀ ଓଡ଼ିଆ ନବଜାଗରଣର ପୁରୋଧା । ଗୌରୀଶଙ୍କର ଓଡ଼ିଶାବାସୀ ବଙ୍ଗାଳୀ ଓ ଉତ୍କଳ ସାହିତ୍ୟ ସମାଜର ସଭାପତି ଏବଂ ‘ଉତ୍କଳ ସଭା’ର ସମ୍ପାଦକ-ପରିଚାଳକ ହୋଇ ଓଡ଼ିଆ ଭାଷା ଆନ୍ଦୋଳନରେ ଭାଗନେଇଥିଲେ । ତାଙ୍କର ସମ୍ପାଦନାରେ ପ୍ରଥମ ଓଡ଼ିଆ ପତ୍ରିକା ଉତ୍କଳ ଦୀପିକା ପ୍ରକାଶିତ ହୋଇ ଓଡ଼ିଆମାନଙ୍କ ସ୍ୱାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦାବି ଉପସ୍ଥାପିତ କରିବାର ଭୂମିକା ଗ୍ରହଣ କରିଥିଲା । ସେ କଟକ ଟାଉନ ହଲର ପ୍ରତିଷ୍ଠାତା ଥିଲେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କଦ୍ୱାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ୱାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରାଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢ଼ି ରଖିଦେଲି କିଏ ପଚାରିବ ମୂଲ !
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଲୋକରତ୍ନ କୁଞ୍ଜବିହାରୀ ଦାଶ, (୭ ମାର୍ଚ୍ଚ ୧୯୧୪ - ୧୪ ମାର୍ଚ୍ଚ ୧୯୯୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଅଧ୍ୟାପକ, ଲେଖକ ଓ ଗବେଷକ ଥିଲେ । ତାଙ୍କର ଆମେରିକାରୁ ୟୁରୋପ୍ ଆଫ୍ରିକା ପୁସ୍ତକ ପାଇଁ ସେ ୧୯୬୫-୬୭ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ମୋ କାହାଣୀ ପାଇଁ ୧୯୭୯ କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର ପାଇଥିଲେ । କଲିକତା ଏକାଡେମୀ ଅଫ୍ ଫୋକଲୋର ତାଙ୍କୁ ୧୯୭୮ ମସିହାରେ "ଲୋକରତ୍ନ" ଉପାଧି ପ୍ରଦାନ କରିଥିଲା । ଜଣେ ସାରସ୍ୱତ ସଂଗଠକ ଭାବରେ ସେ ବହୁ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ଥିଲେ ।
ଅନ୍ତରା ବିଶ୍ୱାସ (ଜନ୍ମ: ୨୧ ନଭେମ୍ବର), ବୃତ୍ତିଗତ ଭାବେ ମୋନାଲିସା ନାମରେ ପରିଚିତ, ଜଣେ ଭାରତୀୟ ଅଭିନେତ୍ରୀ ଯିଏ ପ୍ରଧାନତଃ ଭୋଜପୁରୀ ଚଳଚ୍ଚିତ୍ର ଏବଂ ହିନ୍ଦୀ ଟେଲିଭିଜନରେ କାମ କରନ୍ତି। ସେ ୨୦୧୬ ମସିହାରେ ରିଆଲିଟି ଶୋ ବିଗ୍ ବସ୍ 10 ରେ ପ୍ରତିଯୋଗୀ ଭାବେ ଅଂଶଗ୍ରହଣ କରିଥିଲେ ଏବଂ ଅଲୌକିକ ନାଟକ ନଜର ରେ ମୋହନା ରାଠୋଡ଼ ଭୂମିକା ପାଇଁ ବିଶେଷ ଭାବେ ପରିଚିତ। ମୋନାଲିସାଙ୍କୁ ଭୋଜପୁରୀ ଚଳଚ୍ଚିତ୍ର ଶିଳ୍ପର ସର୍ବାଧିକ ପାରିଶ୍ରମିକ ପାଉଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ ଭାବେ ଗଣାଯାଏ।
ମ୍ୟାଲେରିଆ ରୋଗ ହୁଏ ଏକ ପ୍ରୋଟୋଜୋଆନ ପ୍ଲାଜମୋଡିଅମ ଟାଇପର ଏକ-କୋଷି ଅଣୁବୀକ୍ଷଣିକ ପରଜୀବୀଦ୍ୱାରା (protozoans, a type of single cell microorganism) ଯାହା ମଶା ବାହିତ ହୁଏ ଓ ମାନବ ତଥା ଅନ୍ୟାନ୍ୟ ପଶୁମାନଙ୍କୁ ଆକ୍ରମଣ କରେ । ଏହି ରୋଗରେ ସ୍ୱାଭାବିକ ଭାବେ ଜ୍ୱର, ଶରୀର ବେଆରାମ ଓ ଥକ୍କା ଲାଗେ, ବାନ୍ତି ଓ ମୁଣ୍ଡ ବଥା ହୁଏ । ରୋଗ ଗମ୍ଭୀର ହେଲେ କାମଳ ବା ଜଣ୍ଡିସ ହୁଏ, ବାତ ମାରେ ଓ କୋମା ହୋଇ ମୃତ୍ୟୁ ହୁଏ । ମଶା କାମଡ଼ିବାର ୧୦ରୁ ୧୫ ଦିନ ପରେ ମ୍ୟାଲେରିଆ ଆରମ୍ଭ ହୁଏ । ଉପଯୁକ୍ତ ଚିକିତ୍ସା ନ ହେଲେ ମାସାଧିକ କାଳ ପରେ ଏହି ରୋଗ ଲେଉଟେ । ଯେଉଁ ରୋଗୀ ଅଳ୍ପ ଦିନ ହେଲା ଭଲ ହୋଇଛି ତାକୁ ପୁନଃସଂକ୍ରମଣ ହେଲେ ଲକ୍ଷଣ ସ୍ୱଳ୍ପ ମାତ୍ରାରେ ଦେଖାଯାଏ । ପୁନଶ୍ଚ ସଂକ୍ରମିତ ନ ହେଲେ ଏହି ଆଂଶିକ ପ୍ରତିରୋଧ ଶକ୍ତି କିଛି ମାସ ବା ବର୍ଷ ପରେ କମିଯାଏ । ସାଧାରଣତଃ ଏହି ରୋଗ ସଂକ୍ରମିତ ମାଈ ଆନୋଫିଲିସ୍ ମଶା କାମୁଡ଼ିଲେ ତାହାର ଲାଳରେ ଥିବା ପରଜୀବୀ ଶୁଣ୍ଢ ମାଧ୍ୟମରେ ମଣିଷର ରକ୍ତରେ ପ୍ରବେଶ କରେ । ଏହି ପରଜୀବୀ ରକ୍ତରେ ପ୍ରବାହିତ ହୋଇ ଯକୃତରେ ପ୍ରବେଶ କରେ ଓ ସେଠାରେ ବଡ଼ ହୋଇ ପ୍ରଜନନ କରେ । ଅଧିକାଂଶ ମୃତ୍ୟୁ ପ୍ଲାଜ୍ମୋଡ଼ିଅମ୍ ଫାଲସିପ୍ୟାରମ ଯୋଗୁ ହୁଏ ଓ ପ୍ଲାଜ୍ମୋଡ଼ିଅମ୍ ଭାଇଭାକ୍ସ, ପ୍ଲାଜ୍ମୋଡ଼ିଅମ୍ ଓଭେଲ ଇତ୍ୟାଦି ପରଜୀବୀମାନଙ୍କଦ୍ୱରା ସାମାନ୍ୟ ଲକ୍ଷଣ ପ୍ରକାଶ ପାଏ । ମଣିଷ ଦେହରେ ପ୍ଲାଜ୍ମୋଡ଼ିଅମ୍ ନଲେସି (P. knowlesi) କ୍ୱଚିତ୍ ରୋଗ କରେ । ରୋଗୀର ରକ୍ତ ଫିଲ୍ମକୁ ଅଣୁବୀକ୍ଷଣ ଯନ୍ତ୍ରରେ ପରୀକ୍ଷା କରି ପରଜୀବୀ ମିଳିଲେ, କିମ୍ବା ମ୍ୟାଲେରିଆ ଆଣ୍ଟିଜେନ ଡିଟେକ୍ସନ୍ ଟେଷ୍ଟ (rapid diagnostic tests) କରି ଯୁକ୍ତାତ୍ମକ ଫଳ ମିଳିଲେ ରୋଗ ନିର୍ଣ୍ଣୟ କରାଯାଏ । ମ୍ୟାଲେରିଆ ପ୍ରବଣ ଇଲାକାରେ ପଲିମରେଜ ଚେନ ରିଆକ୍ସନ ପରୀକ୍ଷାଦ୍ୱାରା ମଶାର ଡି.ଏନ.ଏ ଚିହ୍ନଟ କରି ରୋଗ ନିର୍ଣ୍ଣୟ କରିବା ଜଟିଳତା ଓ ବହୁଳ ବ୍ୟୟସାପେକ୍ଷ ଯୋଗୁ ସମ୍ଭବ ହେଉନି । ମ୍ୟାଲେରିଆ ସଙ୍କଟ ଚାରି ଉପାୟରେ ରୋକି ହୁଏ: ମଶାରୀ ବ୍ୟବହାର କରି ମଶା କାମୁଡ଼ାରୁ ରକ୍ଷା ପାଇବା, ମଶାଦୂରକାରୀ ଔଷଧ ବ୍ୟବହାର କରିବା, ମଶାମାରୀ ଔଷଧ ସିଞ୍ଚି ତାଙ୍କୁ ମାରିବା ଓ ସ୍ଥିର ଜଳାଶୟକୁ ନିଷ୍କାସନ କରିବା । ମ୍ୟାଲେରିଆ ପ୍ରବଣ ଇଲାକାକୁ ଯାଉଥିବା ଲୋକଙ୍କୁ ଏହି ରୋଗରୁ ରକ୍ଷା କରିବା ନିମନ୍ତେ କେତେକ ମ୍ୟାଲେରିଆ ପ୍ରତିଷେଧକ ଔଷଧ ଦିଆଯାଏ । ଅତ୍ୟଧିକ ମ୍ୟାଲେରିଆ ହେଉଥିବା ଇଲାକାରେ ପ୍ରଥମ ତିନିମାସ ପରର ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ସଲ୍ଫାଡକ୍ସିନ/ପାଇରିମେଥାମିନ ବଟିକା ଦିଆଯାଏ । ଆବଶ୍ୟକ ହେଉଥିବା ଟିକା ବାହାରି ନାହିଁ, ଚେଷ୍ଟା ଚାଲିଛି । କେତେକ ମ୍ୟାଲେରିଆ ଦୂରକାରୀ ଔଷଧ ସହ ଆର୍ଟେମିସିନିନ ଦେବାକୁ ସୁପାରିସ କରାଯାଏ । ଦ୍ୱିତୀୟ ଧାଡ଼ିରେ ମେଫ୍ଲୋକ୍ୱିନ, ଲୁମେଫାଣ୍ଟ୍ରିନ କିମ୍ବା ସଲ୍ଫାଡକ୍ସିନ/ପାଇରିମେଥାମିନ ଦିଆଯାଏ । ଆର୍ଟେମିସିନିନ ନ ମିଳିଲେ କୁଇନାଇନ୍ ଓ ଡକ୍ସିସାଇକ୍ଲିନ ବ୍ୟବହାର କରାଯାଇ ପାରେ । ଔଷଧ ପ୍ରତିରୋଧ ସମସ୍ୟା ଯୋଗୁ ଚିକିତ୍ସା ଆରମ୍ଭ କରିବା ପୂର୍ବରୁ ମ୍ୟାଲେରିଆ ନିଶ୍ଚିତତା ପରୀକ୍ଷା କରିବା ଆବଶ୍ୟକ । ଅନେକ ଔଷଧର ପ୍ରତିରୋଧ ବାହାରିଲାଣି ଯଥା କ୍ଲୋରୋକ୍ୱିନ ପ୍ରତିରୋଧକାରୀ ଫ୍ୟାଲ୍ସିପ୍ୟାରମ ଓ ଦକ୍ଷିଣପୂର୍ବ ଏସିଆରେ ଆର୍ଟେମିସିନିନ ପ୍ରତିରୋଧ ଏକ ସମସ୍ୟା ସୃଷ୍ଟି କଲାଣି । ପ୍ଲାଜମୋଡିୟମର ପାଞ୍ଚଟି ପ୍ରଜାତି ମନୁଷ୍ୟମାନଙ୍କୁ ଆକ୍ରମଣ କରିପାରେ ତଥା ସଂକ୍ରାମକ ହୋଇଥାଏ । ଅତ୍ୟଧିକ ମାତ୍ରାରେ ମ୍ୟାଲେରିଆ କରାଉଥିବା ଜୀବାଣୁଟି ହେଲା ପି. ଫାଲସିପାରମ; କିନ୍ତୁ ପି. ଭିଭାକ୍ସ, ପି.
କୋଏଲ ମଲ୍ଲିକ (ଜନ୍ମ ନାମ: ରୁକ୍ମିଣୀ ମଲ୍ଲିକ; ଜନ୍ମ ୨୮ ଏପ୍ରିଲ ୧୯୮୨) ଜଣେ ଭାରତୀୟ ଅଭିନେତ୍ରୀ, ଯିଏ ପ୍ରାଧାନତଃ ବଙ୍ଗଳା ଚଳଚ୍ଚିତ୍ରରେ ନିଜ କାର୍ଯ୍ୟ ପାଇଁ ପରିଚିତ। ତାଙ୍କୁ ପ୍ରାୟତଃ “ଟଲି-କ୍ୱିନ୍” ବୋଲି କୁହାଯାଏ। ସେ ଏକ ଫିଲ୍ମଫେୟାର ଆୱାର୍ଡସ୍ ବାଙ୍ଗ୍ଲା, ଦୁଇଟି ବିଏଫଜେଏ ଆୱାର୍ଡସ୍ ଏବଂ ଆନନ୍ଦଲୋକ ପୁରସ୍କାର ସହିତ ଅନେକ ସମ୍ମାନର ଅଧିକାରିଣୀ। ୨୦୨୩ ମସିହାରେ ପଶ୍ଚିମ ବଙ୍ଗ ସରକାର ତାଙ୍କୁ ମହାନାୟକ ସମ୍ମାନ ପ୍ରଦାନ କରିଥିଲେ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ତରୁଣକାନ୍ତି ମିଶ୍ର(ଜନ୍ମ : ୦୨ ଅଗଷ୍ଟ ୧୯୫୦) ଜଣେ ଓଡ଼ିଆ ଗାଳ୍ପିକ ଅଟନ୍ତି । ତାଙ୍କର ୧୫ରୁ ଉର୍ଦ୍ଧ୍ୱ ପୁସ୍ତକ ପ୍ରକାଶିତ ହୋଇସାରିଛି । ସାହିତ୍ୟ କ୍ଷେତ୍ରରେ ଉତ୍କୃଷ୍ଟତା ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ଶାରଳା ପୁରସ୍କାର ଭଳି ବହୁ ପୁରସ୍କାର ଲାଭ କରିଛନ୍ତି । ବୃତ୍ତିରେ ସେ ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ ଏବଂ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବରେ କାର୍ଯ୍ୟକରି ସେବାନିବୃତ ହୋଇସାରିଛନ୍ତି । ପରେ ସେ ଓଡ଼ିଶାର ସୂଚନା କମିଶନର ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ସରୋଜିନୀ ସାହୁ ଜଣେ (ଜନ୍ମ ୧୯୫୬) ଭାରତୀୟ ଓଡ଼ିଆ-ଭାଷୀ ଔପନ୍ୟାସିକା, ଗାଳ୍ପିକା, କବି, ପ୍ରାବନ୍ଧିକା । ତାଙ୍କର ସାହିତ୍ୟ କୃତି ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମି ପୁରସ୍କାର ଓ ଶାରଳା ପୁରସ୍କାରରେ ସମ୍ମାନୀତ । ସେ ଜଣେ ଭାରତୀୟ ନାରୀବାଦୀ ଲେଖିକା ଭାବରେ ଜଣାଶୁଣା ଓ ଇଂରାଜୀ ଖବରକାଗଜ ଦି ନିଉ ଇଣ୍ଡିଆନ ଏକ୍ସପ୍ରେସର ନିୟମିତ ପ୍ରାବନ୍ଧିକା ଓ ଚେନ୍ନାଇରେ ଥିବା ଇଂରାଜୀ ପତ୍ରିକା ଇଣ୍ଡିଆନ ଏଜର ସହ-ସମ୍ପାଦିକା । ସେ କିଣ୍ଡଲେ ପତ୍ରିକା ଦ୍ୱାରାଭାରତର ୨୫ ଜଣ ଅସାଧାରଣ ନାରୀଙ୍କ ମଧ୍ୟରୁ ଜଣେ ଭାବେ ନିର୍ବାଚିତା ।
ପୂଜା ବତ୍ରା ଶାହ (ଜନ୍ମ: ୨୭ ଅକ୍ଟୋବର ୧୯୭୫) ଜଣେ ଭାରତୀୟ-ଆମେରିକୀୟ ଅଭିନେତ୍ରୀ, ମୋଡେଲ୍ ଓ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ବିଜେତା। ସେ ପ୍ରଧାନତଃ ହିନ୍ଦୀ ଚଳଚ୍ଚିତ୍ରରେ କାମ କରନ୍ତି। ୧୯୯୩ ମସିହାରେ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ସେ ରନର୍-ଅପ୍ ହୋଇଥିଲେ ଏବଂ ଫେମିନା ମିସ୍ ଇଣ୍ଡିଆ ଇଣ୍ଟରନ୍ୟାସନାଲ୍ ୧୯୯୩ ଭାବେ ଟାଇଟଲ ଜିତିଥିଲେ। ପରେ ସେ ମିସ୍ ଇଣ୍ଟରନ୍ୟାସନାଲ୍ ୧୯୯୩ରେ ଭାରତର ପ୍ରତିନିଧିତ୍ୱ କରିଥିଲେ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
ମନ୍ଦିରା ବେଦୀ (ଜନ୍ମ: ୧୫ ଏପ୍ରିଲ ୧୯୭୨) ଜଣେ ଭାରତୀୟ ଅଭିନେତ୍ରୀ, ଫ୍ୟାଶନ୍ ଡିଜାଇନର୍ ଓ ଟେଲିଭିଜନ୍ ପ୍ରସ୍ତୁତକାରୀ । ୧୯୯୪ ମସିହାରେ ଭାରତର ଜାତୀୟ ଚ୍ୟାନେଲ୍ ଦୂରଦର୍ଶନରେ ପ୍ରସାରିତ ଟେଲିଭିଜନ୍ ଧାରାବାହିକ ଶାନ୍ତିରେ ମୁଖ୍ୟ ଭୂମିକା କରି ସେ ଖ୍ୟାତି ଲାଭ କରିଥିଲେ । ୨୦୧୯ ମସିହାରେ ସେ ସାହୋ ଚଳଚ୍ଚିତ୍ରରେ ଏକ ନେଗେଟିଭ୍ ଭୂମିକାରେ ଅଭିନୟ କରିଥିଲେ। ବେଦୀ ଔରତ, ଦୁଶ୍ମନ ଓ କ୍ୟୁଁକି ସାସ୍ ଭି କଭି ବହୁ ଥି ପରି ଅନେକ ହିନ୍ଦୀ ଟିଭି ଧାରାବାହିକରେ ମଧ୍ୟ ଅଭିନୟ କରିଛନ୍ତି। ପରେ ସେ ୨୦୦୩ ଓ ୨୦୦୭ ମସିହାରେ ଆଇସିସି କ୍ରିକେଟ୍ ବିଶ୍ୱକପ୍, ୨୦୦୪ ଓ ୨୦୦୬ ମସିହାରେ ଚ୍ୟାମ୍ପିଅନ୍ସ ଟ୍ରୋଫି ଏବଂ ସୋନି ମ୍ୟାକ୍ସ ପାଇଁ ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ର ସଂଚାଳନା କରିଥିଲେ। ବେଦୀ ପିଇଟିଏ( PETA) ପାଇଁ ଫକ୍ସ୍ ଲେଦର୍ର ପ୍ରଚାରକ ଭାବେ କାମ କରିଛନ୍ତି। ୨୦୧୪ ମସିହାରେ ଲାକ୍ମେ ଫ୍ୟାଶନ୍ ଉଇକ୍ରେ ସାଡ଼ୀ ସଂଗ୍ରହ ପ୍ରଦର୍ଶନ କରି ସେ ଫ୍ୟାଶନ୍ ଡିଜାଇନର୍ ଭାବେ ଆରମ୍ଭ କରିଥିଲେ। ୨୦୧୩ ମସିହାରେ ବେଦୀ ନିଜର ସିଗ୍ନେଚର୍ ସାଢୀ ଦୋକାନ ଆରମ୍ଭ କରିଥିଲେ।
ସୁଲଭା ଆର୍ଯ୍ୟ (ଜନ୍ମ: ୧୫ ଜୁଲାଇ ୧୯୫୦) ଜଣେ ଭାରତୀୟ ଅଭିନେତ୍ରୀ, ଯିଏ ହିନ୍ଦୀ ଓ ମରାଠୀ ଚଳଚ୍ଚିତ୍ର, ଟେଲିଭିଜନ ଏବଂ ମଞ୍ଚ ନାଟକ ଶିଳ୍ପରେ କାର୍ୟରତ। ସେ ପ୍ରସିଦ୍ଧ ଭାରତୀୟ ସିନେମାଟୋଗ୍ରାଫର ଇଶାନ ଆର୍ଯ୍ୟଙ୍କ ବିଧବା ଏବଂ ସିନେମାଟୋଗ୍ରାଫର ସମୀର ଆର୍ଯ୍ୟ ଓ ଅଭିନେତା ସାଗର ଆର୍ଯ୍ୟଙ୍କ ମାତା । ସେ ଦୂରଦର୍ଶନର ୧୯୮୦ ଦଶକର ସିଟକମ୍ ଏ ଜୋ ହୈ ଜିନ୍ଦଗୀ ରେ ଭଟ୍ଟାଚାର୍ଯ୍ୟଙ୍କ ପତ୍ନୀ ମନ୍ଦିରା ଭୂମିକା ପାଇଁ ବିଶେଷ ପରିଚିତ। ପରେ ସେ “ସସୁରାଲ ଗେନ୍ଦା ଫୁଲ” ଧାରାବାହିକରେ ଶାନ୍ତି ମାଉସୀ ଭୂମିକାରେ ମଧ୍ୟ ଅଭିନୟ କରିଥିଲେ। ସେ ୨୦୦୩ ମସିହାର ରୋମାଣ୍ଟିକ୍ ବଲିଉଡ୍ ନାଟକୀୟ ଚଳଚ୍ଚିତ୍ର କଲ୍ ହୋ ନା ହୋରେ କାନ୍ତାବେନ୍ ଭୂମିକାରେ ଅଭିନୟ କରିଥିଲେ ଏବଂ ଶ୍ୟାମ ବେନେଗଲ୍ଙ୍କ ଅମରାବତୀ କି କଥାଏଁରେ ଲକ୍ଷ୍ମୀଆମ୍ମା ଭୂମିକାରେ ଅଭିନୟ କରିଥିଲେ।