ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କପିଳେନ୍ଦ୍ର ଦେବ (୧୪୩୫–୧୪୬୫, ଜନ୍ମ: କପିଳେନ୍ଦ୍ର ରାଉତ) ଜଣେ ଉତ୍କଳୀୟ ସମ୍ରାଟ ଥିଲେ । ତାଙ୍କ ସମୟରେ ଉତ୍କଳର ସୀମା ଉତ୍ତରରେ ଗଙ୍ଗା ନଦୀଠାରୁ ଦକ୍ଷିଣରେ କାବେରୀ ନଦୀ ପର୍ଯ୍ୟନ୍ତ ବିସ୍ତୃତ ଥିଲା ।ଯାଏଁ ଅଞ୍ଚଳ ଅଧୀକାର କରି "ଗଜପତି ଗୌଡେଶ୍ବର ନବକୋଟି କର୍ଣ୍ଣାଟ କଳବର୍ଗେଶ୍ୱର ଉପାଧୀ" ପାଇଥିଲେ । ସେ ସୂର୍ଯ୍ୟ ବଂଶର ପ୍ରତିଷ୍ଠାତା ତଥା ପ୍ରଥମ ନରପତି ଥିଲେ । "ଗୌଡ଼େଶ୍ବର"ର ଅର୍ଥ ଗୌଡ଼ ଅର୍ଥାତ୍ ବଙ୍ଗର ଅଧୀଶ୍ବର ଏବଂ "ନବକୋଟି କର୍ଣାଟ କଳବର୍ଗେଶ୍ୱର"ର ଅର୍ଥ କର୍ଣ୍ଣାଟ (ବିଜୟନଗର ସାମ୍ରାଜ୍ଯ) ଏବଂ କଳବର୍ଗ (ବାହମନୀ ସାମ୍ରାଜ୍ୟର ପୂର୍ବତନ ରାଜଧାନୀ ନାମ ଥିଲା ଗୁଲବର୍ଗା)ର ନଅକୋଟି ଅଧିବାସୀଙ୍କର ପ୍ରଭୁ । ସେ ନିଜକୁ ଜଗନ୍ନାଥଙ୍କ ପରମ ସେବକ ମଣୁଥିଲେ ଓ ଗଜପତି ଉପାଧିରେ ଭୂଷିତ କରିଥିଲେ ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ରାଣୀ ଚାଟାର୍ଜୀ (ଜନ୍ମ: ୩ ନଭେମ୍ବର ୧୯୮୯, ମୂଳ ନାମ ସବିହା ଶେଖ), ଜଣେ ଭାରତୀୟ ଅଭିନେତ୍ରୀ, ଯିଏ ପ୍ରାୟତଃ ଭୋଜପୁରୀ ଚଳଚ୍ଚିତ୍ରରେ କାମ କରନ୍ତି। ସେ ଭୋଜପୁରୀ ସିନେମାର ସର୍ବାଧିକ ପରିଶ୍ରମିକ ପାଉଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ ବୋଲି ଗଣ୍ୟ। ଚଟର୍ଜୀ ୨୦୦୪ ମସିହାରେ ସସୁରା ବଡା ପୈସାୱାଲା ଚଳଚ୍ଚିତ୍ର ମାଧ୍ୟମରେ ତାଙ୍କ ଅଭିନୟ ଜୀବନର ଆରମ୍ଭ କରିଥିଲେ, ଯାହା ଏପର୍ଯ୍ୟନ୍ତ ସର୍ବାଧିକ ଆୟ କରିଥିବା ଭୋଜପୁରୀ ଚଳଚ୍ଚିତ୍ରମାନଙ୍କ ମଧ୍ୟରେ ଗଣ୍ୟ। ସେ ପାଞ୍ଚଟି Bhojpuri Film Awards ଓ ତିନୋଟି International Bhojpuri Film Awards ସହିତ ଅନେକ ପୁରସ୍କାର ଜିତିଛନ୍ତି।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଯଶୋଧାରା ମିଶ୍ର (ଜନ୍ମ ୬ ଜାନୁଆରୀ ୧୯୫୧) ଓଡ଼ିଶାରେ ଜନ୍ମିତ ଜଣେ ଇଂରାଜୀ ପ୍ରଫେସର, ଔପନ୍ୟାସିକ, କ୍ଷୁଦ୍ରଗଳ୍ପ ଲେଖକ, କବି, ଗାଳ୍ପିକ ଏବଂ ଅନୁବାଦକ । ସେ ଓଡ଼ିଆ ବ୍ୟତୀତ ଇଂରାଜୀ ଏବଂ ହିନ୍ଦୀ ଭାଷାରେ ମଧ୍ୟ ଲେଖିଥାନ୍ତି । ତାଙ୍କ ଗଳ୍ପ ଗୁଡ଼ିକ ଅନ୍ୟ ଭାରତୀୟ ଭାଷାରେ ଅନୁବାଦ କରାଯାଇ ପତ୍ରିକା ଗୁଡ଼ିକରେ ପ୍ରକାଶିତ ହୋଇଛି । ତାଙ୍କର ଲେଖାଗୁଡ଼ିକ ଓଡ଼ିଶା ଏବଂ ମଧ୍ୟପ୍ରଦେଶ ବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟର ପାଠ୍ୟକ୍ରମରେ ଦେଖିବାକୁ ମିଳେ । ୨୦୦୭ରେ ତାଙ୍କର ଗଳ୍ପ 'ବର' ଦୂରଦର୍ଶନଦ୍ୱାରା ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ବଛା ହୋଇଥିଲା । କେନ୍ଦ୍ର ସାହିତ୍ୟ ଏକାଡେମୀର ମୁଖପାତ୍ର "ଦି ଇଣ୍ଡିଆନ ଲିଟରେଚର"ର ସମ୍ପାଦକ ଭାବରେ ସେ କାର୍ଯ୍ୟ କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କଦ୍ୱାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ୱାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଓଡ଼ିଶାର ଅନୁସୂଚିତ ଜନଜାତି ତାଲିକା
ଅନୁସୂଚିତ ଜନଜାତି ନିର୍ଦ୍ଦିଷ୍ଟ ଜନଜାତି ଯେଉଁମାନେ ସେ ସ୍ଥାନର ମୂଳ ଅଧିବାସୀ, ଯେଉଁଥି ପାଇଁ ସେମାନେ ଆଦିବାସୀ ଭାବରେ ମଧ୍ୟ ପରିଚିତ । ଭାରତରେ, ଭାରତୀୟ ଗଣତନ୍ତ୍ରର ସମ୍ବିଧାନଦ୍ୱାରା ସ୍ୱୀକୃତିପ୍ରାପ୍ତ ଅନୁସୂଚିତ ଜନଜାତି ମଧ୍ୟରୁ ୬୨ ପ୍ରକାର ଅନୁସୂଚିତ ଜନଜାତି ଓଡ଼ିଶାରେ ବସବାସ କରନ୍ତି । ଏହି ୬୨ଟି ଜନଜାତି ମଧ୍ୟରୁ ୧୩ଟି ଜନଜାତି "ବିଶେଷ ଭାବରେ ଦୁର୍ବଳ ଆଦିବାସୀ ଗୋଷ୍ଠୀ" ଶ୍ରେଣୀରେ ଅନ୍ତର୍ଭୁକ୍ତ । ଆଦିବାସୀମାନେ ଓଡ଼ିଶାର ମୋଟ ଜନସଂଖ୍ୟାର ୨୨.୫%ରୁ ଅଧିକ (ସମୁଦାୟ ୮,୧୪୫,୦୮୧) ଏବଂ ଭାରତର ମୋଟ ଆଦିବାସୀ ଜନସଂଖ୍ୟାର ୯.୭% ଅଟନ୍ତି ।
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ୱାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ୱତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ଼ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
ଓଡ଼ିଶାରେ ଗଙ୍ଗବଂଶର ଉତ୍ପତି ଓ ରାଜତ୍ୱ ଅନେକ ରାଜନୈତିକ ଘଟଣାର ସମାହାର ଥିଲା । ସୋମବଂଶର ଶେଷ ରାଜାମାନଙ୍କର ଦୁର୍ବଳ ଶାସନ ଯୋଗୁଁ ଓଡ଼ିଶାରେ ଅରାଜକତ ଓ ରାଜନୈତିକ ଅଧାପତନ ଆରମ୍ଭ ହୋଇଥିଲା । ଗଙ୍ଗବଂଶର ଉତ୍ପତି ଦକ୍ଷିଣାତ୍ୟ କଳିଙ୍ଗ ଦେଶରେ ପ୍ରାୟ ପଞ୍ଚମ ଶତାବ୍ଦୀର ଶେଷ ଭାଗରେ ହୋଇଥିଲା । ତାହା ପୂର୍ବ ଗଙ୍ଗ ବଂଶ ନାମରେ ପରିଚିତ ଥିଲା । ଏହି ବଂଶର ରାଜ ପ୍ରଥମ ଇନ୍ଦ୍ର ବର୍ମନ ପରାକ୍ରମଶାଳୀ ହୋଇ ନିଜକୁ ତ୍ରୀକଳିଙ୍ଗାଧିପତି ଉପାଧିରେ ଭୂଷିତ କରାଇ କଳିଙ୍ଗ ନଗରଠାରେ ରାଜଧାନୀ ସ୍ଥାପନ କରି ନିରବଛିନ୍ନ ଭାବରେ ଶାସନ କରିଥିଲେ । ଏହା ବର୍ତ୍ତମାନର ଆନ୍ଧ୍ରପ୍ରଦେଶ ରାଜ୍ୟର୍ରେ ଅବସ୍ଥିତ ମୁଖଲିଙ୍ଗମ୍ ଅଟେ । ସେଠାରେ ସେହି ପୂର୍ବ ଗଙ୍ଗବଂଶ ରାଜାମାନେ ରାଜନୈତିକ ଘାତ ପ୍ରତିଘାତ ମଧ୍ୟରେ ଏକାଦଶ ଶତବ୍ଦୀ ପର୍ଯ୍ୟନ୍ତ ରାଜତ୍ୱ କରିଥିଲେ । ଏକାଦଶ ଶତବ୍ଦୀରେ ରାଜ ପଞ୍ଚମ ବଜ୍ରହସ୍ତ କଳିଙ୍ଗ ଇତିହାସକୁ ନୂତନ ମୋଡ ଦେଇଥିଲେ । ତାଙ୍କ ସମୟରେ କଳିଙ୍ଗର ରାଜ୍ୟ ବିସ୍ତାର ଓ ପ୍ରଶାସନିକ ଦୃଢିକରଣ ହୋଇଥିଲା । ତାଙ୍କର ଉତ୍ତରାଧିକାରୀ ରାଜ ରାଜରାଜ ଦେବ ମଧ୍ୟ ଜଣେ ସାମ୍ରାଜ୍ୟବାଦୀ ଶାସକ ଥିଲେ । ସେ ଚୋଳ, ଉତ୍କଳ, କିମିଡ, କୋଶଳ ଆଦି ରାଜମାନଙ୍କୁ ପରାଜିତ କରି ଓ ବୈବାହିକ ସମ୍ପର୍କ ରଖି ଏକ ବିଶାଳ ସାମ୍ରାଜ୍ୟ ଗଢିଥିଲେ । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର ସୋମନଂଶୀ ଶାସକମାନଙ୍କର ଦୁର୍ବଳତା ଓ ଅପାରଗତାର ସୁଯୋଗ ନେଇ ଅନନ୍ତ ବର୍ମନ ଚୋଡଗଙ୍ଗ ଦେବ ପ୍ରାୟ ଖ୍ରୀ:ଅ: ୧୦୭୭ ବେଳକୁ ଓଡ଼ିଶାର ଗଙ୍ଗବଂଶର ସାମ୍ରାଜ୍ୟ ପ୍ରତିଷ୍ଠା ଆରମ୍ଭ କରିଥିଲେ । ତେଣୁ ସେ ଓଡ଼ିଶାର ଗଙ୍ଗ ସାମ୍ରାଜ୍ୟର ନିର୍ମାତ ଅଟନ୍ତି । ପୂର୍ବ ଗଙ୍ଗବଂଶର ଦାୟଦଭାବେ ଅନନ୍ତବର୍ମନ ଚୋଡଗଙ୍ଗ ଦେବ ଓଡ଼ିଶାରେ ସାମ୍ରାଜ୍ୟବାଦୀ ଗଙ୍ଗବଂଶର ସ୍ଥାପୟିତା ଥିଲେ । ଖ୍ରୀ:ଅ: ୧୦୭୬ରେ ଅନନ୍ତବର୍ମନ ଚୋଡଗଙ୍ଗ ଦ୍ଦେବଙ୍କ ରାଜତ୍ୱ ଆରମ୍ଭ କାଳଠାରୁ ସାମ୍ରଜ୍ୟବାଦୀ ଗଙ୍ଗବଂଶର ଉତଥାନ ଆରମ୍ଭ ହୋଇ ନରସିଂହ ପ୍ରଥମଙ୍କ ରାଜତ୍ୱ କାଳରେ ଯଥା- ଖ୍ରୀ:ଅ: ୧୨୩୮ରେ ତାହ ଶୀର୍ଷ ସ୍ଥାନକୁ ସ୍ପର୍ଶ କରିଥିଲା । କାଳକ୍ରମେ ଏହି ବଂଶର ଶେଷ ନରପତି ଚତୁର୍ଥ ଭାନୁଦେବଙ୍କ ରାଜତ୍ୱ କାଳରେ ଯଥା ୧୪୩୪ ମସିହା ବେଳକୁ ଏହି ବଂଶର ଅବସାନ ଘଟିଥିଲା ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
କଦଳୀ ହେଉଛି ଏକ ଲମ୍ବାଳିଆ ଖଦ୍ଯୋପଯୋଗୀ ଫଳ, ଉଦ୍ଭିଦବିଜ୍ଞାନ ଅନୁସାରେ ଏକ କୋଳି । ଏଗୁଡିକ ମୁସା ପ୍ରଜାତିର ବଡ଼ବଡ଼ ଗୁଳ୍ମଜାତୀୟ ଉଦ୍ଭିଦମାନଙ୍କର ଫଳ । ଫଳଟି ବିଭିନ୍ନ ରଙ୍ଗ ଏବଂ ଆକାରର କିନ୍ତୁ ସାଧାରଣତଃ ଲମ୍ବା, ବଙ୍କା ଏବଂ ଶର୍କରାରେ ପୂର୍ଣ୍ଣ ମାଂସ ଯୁକ୍ତ ହୋଇଥାଏ, ଯାହା ଏକ ସବୁଜ କିମ୍ବା ହଳଦିଆ ଚୋପାଦ୍ୱାରା ଘୋଡାଇ ହୋଇ ରହିଥାଏ । କଦଳୀ, ଗଛର ଉପରପଟୁ ଏକତ୍ର ଫଳିଥାଏ । ବର୍ତ୍ତମାନର ପ୍ରାୟ ସମସ୍ତ ମଞ୍ଜି-ବିହୀନ କଦଳୀ ଦୁଇଟି ବନ୍ଯ ପ୍ରଜାତିଠାରୁ ଆସିଥାଏ - ମୁସା ଆକୁମିନାଟା, ଏବଂ ମୁସା ବାଲ୍ୱିସିଆନା।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
ତୁଳସୀ ମୁଣ୍ଡା (ଜନ୍ମ: ୧୫ ଜୁଲାଇ ୧୯୪୭) ଓଡ଼ିଶାରେ ଜନ୍ମିତ ଜଣେ ଆଦିବାସୀ ସମାଜସେବୀ । ଓଡ଼ିଶାର ଆଦିବାସୀଙ୍କ ମଧ୍ୟରେ ସାକ୍ଷରତା ପ୍ରସାର କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ ୨୦୦୧ ମସିହାରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ । ସେ ବିନୋବା ଭାବେଙ୍କଦ୍ୱାରା ଆରମ୍ଭ ହୋଇଥିବା ଭୂଦାନ ଆନ୍ଦୋଳନରେ ୧୪ ବର୍ଷ ବୟସରେ ସାମିଲ ହୋଇଥିଲେ । ସେ ୧୯୬୪ ମସିହାରେ ଓଡ଼ିଶାର ଲୁହାପଥର ଖଣି ଅଞ୍ଚଳରେ ସ୍ଥାନୀୟ ଆଦିବାସୀ ପିଲାମାନଙ୍କୁ ଶିକ୍ଷା ଦେବା ପାଇଁ ଏକ ଅଣଆନୁଷ୍ଠାନିକ ବିଦ୍ୟାଳୟ ଆରମ୍ଭ କରିଥିଲେ । ଖଣିରେ ଶିଶୁଶ୍ରମିକ ହେବା ବଦଳରେ ଶିଶୁମାନେ ସେଠାରେ ଶିକ୍ଷାଲାଭ କରିଥିଲେ । ସେ ନିଜେ କେନ୍ଦୁଝରରେ ଖଣିରେ ଶିଶୁଶ୍ରମିକ ଥିଲେ ଓ ସେଥି ପାଇଁ ନିରକ୍ଷର ରହି କୌଣସି ଆନୁଷ୍ଠାନିକ ଶିକ୍ଷା ପାଇବାରୁ ବଞ୍ଚିତ ହୋଇଥିଲେ । ଆଦିବାସୀ ପିଲାଙ୍କ ଶିକ୍ଷା ଓ ଅଧିକାର ପାଇଁଁ ସେ ୨୦ରୁ ଉର୍ଦ୍ଧ୍ୱ ଆବାସିକ ବିଦ୍ୟାଳୟର ପରିଚାଳନା କରନ୍ତି ଓ ଏହି ସ୍କୁଲମାନଙ୍କରେ ୨୦,୦୦୦ରୁ ଅଧିକ ଛାତ୍ର ଶିକ୍ଷାଲାଭ କରିଛନ୍ତି । ୨୦୧୭ ମସିହାରେ ତାଙ୍କ ଜୀବନୀ ଉପରେ ପର୍ଯ୍ୟବଶିତ ଓଡ଼ିଆ ଚଳଚ୍ଚିତ୍ର ତୁଳସୀ ଅପା ମୁକ୍ତିଲାଭ କରିଥିଲା ।
ନେହା ଧୁପିଆ (ଜନ୍ମ: ୨୭ ଅଗଷ୍ଟ ୧୯୮୦) ଜଣେ ଭାରତୀୟ ହିନ୍ଦୀ ଚଳଚ୍ଚିତ୍ର ଅଭିନେତ୍ରୀ ଓ ପୂର୍ବତନ ମିସ୍ ଇଣ୍ଡିଆ। ସେ ପ୍ରାଧାନତଃ ହିନ୍ଦୀ ଭାଷାର ଚଳଚ୍ଚିତ୍ରରେ କାମ କରିଥିଲେ ମଧ୍ୟ ତେଲୁଗୁ ଓ ମଲୟାଳମ ଭାଷାର କିଛି ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି। ତାଙ୍କର ପ୍ରଥମ ଅଭିନୀତ ଚଳଚ୍ଚିତ୍ର ମଲୟାଳମ ଭାଷାର ଥିଲା। ନେହା ପ୍ରଥମେ ମଞ୍ଚ ନାଟକରେ ଅଭିନୟ ଆରମ୍ଭ କରିଥିଲେ ଏବଂ ରକ୍ ବ୍ୟାଣ୍ଡ ୟୁଫୋରିଆର ଏକ ସଙ୍ଗୀତ ଭିଡିଓରେ ମଡେଲ୍ ଭାବେ ଦେଖାଦେଇଥିଲେ। ପରେ ସେ ମଡେଲିଙ୍ଗ ଜଗତରେ ପ୍ରବେଶ କରିଥିଲେ।
ଏୟାର ତାମାଜେକ୍, ଯାହାକୁ ଟାୟାର୍ଟ ତାମାଜେକ୍ କିମ୍ବା ଟାୟିରତ୍ ଭାବରେ ମଧ୍ୟ ଜଣାଶୁଣା , ଏହା ଆଫ୍ରୋ-ଏସିଆଟିକ୍ ଭାଷା ପରିବାରର ତୁଆରେଗ୍ ଗୋଷ୍ଠୀ ମଧ୍ୟରେ ଏକ ବର୍ବର ଭାଷା ପ୍ରକାର, ଯାହା ମୁଖ୍ୟତଃ ଉତ୍ତର ନାଇଜରର ଆଗାଡେଜ୍ ଅଞ୍ଚଳର ଆଇର୍ ପର୍ବତମାଳାରେ ଥିବା ତୁଆରେଗ୍ ଲୋକଙ୍କ ଦ୍ୱାରା କଥିତ । ୨୦୨୧ ସୁଦ୍ଧା ପ୍ରାୟ ୪୮୦,୦୦୦ ସ୍ଥାନୀୟ ଭାଷାଭାଷୀଙ୍କ ସହିତ, ଏହା ସାହାରା ମରୁଭୂମି ଅଞ୍ଚଳରେ ତୁଆରେଗ୍ ସାଂସ୍କୃତିକ ପରିଚୟର ଏକ ପ୍ରମୁଖ ଚିହ୍ନକ ଭାବରେ କାର୍ଯ୍ୟ କରେ , ଯେଉଁଠାରେ ଏହାକୁ ଦୈନନ୍ଦିନ ଯୋଗାଯୋଗ, ମୌଖିକ ପରମ୍ପରା ଏବଂ ପ୍ରାଥମିକ ଶିକ୍ଷା ଏବଂ ରେଡିଓ ପ୍ରସାରଣ ଭଳି ଆନୁଷ୍ଠାନିକ ପ୍ରସଙ୍ଗରେ ବର୍ଦ୍ଧିତ ଭାବରେ ବ୍ୟବହୃତ ହେଉଛି ।
ସମ୍ରାଟ ଜାହାଙ୍ଗୀରଙ୍କ ତୃତୀୟ ସନ୍ତାନ ଶାହଜାହାନ ୧୫୯୨ ମସିହା ଜାନୁଆରୀ ୫ତାରିଖରେ ଜନ୍ମଗ୍ରହଣ କରିଥିଲେ । ଜାହାଙ୍ଗୀରଙ୍କ ମୃତ୍ୟୁପରେ ନିଜର ସବୁ ଭାଇଙ୍କୁ ହତ୍ୟା କରି ସେ ୧୬୨୮ ଫେବୃଆରୀ ୪ ତାରିଖରେ ସିଂହାସନ ଆରୋହଣ କରିଥିଲେ । ତାଙ୍କର ୩ ପତ୍ନୀ ମଧ୍ୟରୁ, ଦ୍ୱିତୀୟ ଥିଲେ ମମତାଜ, ମମତାଜଙ୍କ ସହ ତାଙ୍କ ବିବାହ୧୬୧୨ ମସିହାରେ ହୋଇଥିଲା । ୧୬୩୧ରେ ମମତାଜଙ୍କ ମୃତ୍ୟୁ ପରେ, ତାଙ୍କ ସ୍ମୃତିରେ ସେ ତାଜମହଲ ନିର୍ମାଣ କରିଥିଲେ । ଦିଲ୍ଲୀର ଜାମା ମସଜିଦ ଓ ଆଗ୍ରାର ମୋତି ମସଜିଦ ମଧ୍ୟ ତାଙ୍କଦ୍ୱାରା ନିର୍ମିତ ହୋଇଥିଲା । ଶାହଜାହାନାବାଦ ନାମରେ ସେ ଏକ ନୂଆ ରାଜଧାନୀ ଗଢ଼ିଥିଲେ । ୧୬୫୮ ମସିହାରେ ଶାହଜାହାନଙ୍କ ପୁତ୍ର ଆଉରଙ୍ଗଜେବ ତାଙ୍କୁ ବନ୍ଦୀ କରି ସିଂହାସନ ଆରୋହଣ କରିଥିଲେ । ଦୀର୍ଘ ୮ବର୍ଷ ବନ୍ଦୀ ଜୀବନ ବିତାଇବାପରେ ୨୨ ଜାନୁଆରୀ ୧୬୬୬ରେ ତାଙ୍କର ମୃତ୍ୟୁ ଘଟିଥିଲା ।
ଶକ୍ କହିଲେ ଶରୀରର ତନ୍ତୁମାନଙ୍କୁ ସ୍ୱଳ୍ପ ପରିମାଣର ରକ୍ତ ସଞ୍ଚାଳନ ଅବସ୍ଥାକୁ ବୁଝାଏ ଯାହା କେତେକ ସଞ୍ଚାଳନ (circulatory system) ସମସ୍ୟା ଯୋଗୁ ଉପୁଜିଥାଏ । ପ୍ରଥମ ଅବସ୍ଥାରେ ଦୁର୍ବଳତା, ଦୃତ ହୃତ୍ପିଣ୍ଡ ଗତି ହାର (fast heart rate), ଦୃତ ଶ୍ୱାସକ୍ରିୟା (fast breathing), ଅଧିକ ଝାଳ ବୋହିବା, ଉତ୍କଣ୍ଠା, ଉତ୍କଣ୍ଠା ଓ ଅଧିକ ଶୋଷ ହୁଏ । ଏହା ପରେ ଦ୍ୱନ୍ଦ୍ୱ, ଚେତାଶୁନ୍ୟ (unconsciousness), ହୃଦ୍ପାତ ହୋଇପାରେ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ରି ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହୋଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ପୂଜା ବତ୍ରା ଶାହ (ଜନ୍ମ: ୨୭ ଅକ୍ଟୋବର ୧୯୭୫) ଜଣେ ଭାରତୀୟ-ଆମେରିକୀୟ ଅଭିନେତ୍ରୀ, ମୋଡେଲ୍ ଓ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ବିଜେତା। ସେ ପ୍ରଧାନତଃ ହିନ୍ଦୀ ଚଳଚ୍ଚିତ୍ରରେ କାମ କରନ୍ତି। ୧୯୯୩ ମସିହାରେ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ସେ ରନର୍-ଅପ୍ ହୋଇଥିଲେ ଏବଂ ଫେମିନା ମିସ୍ ଇଣ୍ଡିଆ ଇଣ୍ଟରନ୍ୟାସନାଲ୍ ୧୯୯୩ ଭାବେ ଟାଇଟଲ ଜିତିଥିଲେ। ପରେ ସେ ମିସ୍ ଇଣ୍ଟରନ୍ୟାସନାଲ୍ ୧୯୯୩ରେ ଭାରତର ପ୍ରତିନିଧିତ୍ୱ କରିଥିଲେ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।