ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କଦଳୀ ହେଉଛି ଏକ ଲମ୍ବାଳିଆ ଖଦ୍ଯୋପଯୋଗୀ ଫଳ, ଉଦ୍ଭିଦବିଜ୍ଞାନ ଅନୁସାରେ ଏକ କୋଳି । ଏଗୁଡିକ ମୁସା ପ୍ରଜାତିର ବଡ଼ବଡ଼ ଗୁଳ୍ମଜାତୀୟ ଉଦ୍ଭିଦମାନଙ୍କର ଫଳ । ଫଳଟି ବିଭିନ୍ନ ରଙ୍ଗ ଏବଂ ଆକାରର କିନ୍ତୁ ସାଧାରଣତଃ ଲମ୍ବା, ବଙ୍କା ଏବଂ ଶର୍କରାରେ ପୂର୍ଣ୍ଣ ମାଂସ ଯୁକ୍ତ ହୋଇଥାଏ, ଯାହା ଏକ ସବୁଜ କିମ୍ବା ହଳଦିଆ ଚୋପାଦ୍ୱାରା ଘୋଡାଇ ହୋଇ ରହିଥାଏ । କଦଳୀ, ଗଛର ଉପରପଟୁ ଏକତ୍ର ଫଳିଥାଏ । ବର୍ତ୍ତମାନର ପ୍ରାୟ ସମସ୍ତ ମଞ୍ଜି-ବିହୀନ କଦଳୀ ଦୁଇଟି ବନ୍ଯ ପ୍ରଜାତିଠାରୁ ଆସିଥାଏ - ମୁସା ଆକୁମିନାଟା, ଏବଂ ମୁସା ବାଲ୍ୱିସିଆନା।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅହମଦାବାଦ ଭାରତର ଏକ ପ୍ରମୁଖ ସହର ତଥା ଗୁଜରାଟ ରାଜ୍ୟର ମୁଖ୍ୟ ବାଣିଜ୍ୟ କେନ୍ଦ୍ର ଅଟେ । ଏହାର ପୁରୁଣା ନାମ କର୍ଣ୍ଣାବତୀ ଥିଲା । ସାବରମତୀ ନଦୀ କୂଳରେ ଅବସ୍ଥିତ ଏହି ମହାନଗରଟି ଭାରତର ୫ମ ବୃହତ୍ତମ ନଗର । ଅହମଦାବାଦ ଗୁଜରାଟର ପୁରୁଣା ରାଜଧାନୀ ଥିଲା, ଯାହା ଏବେ ୩୨କିମି ଦୂର ଗାନ୍ଧୀନଗରକୁ ସ୍ଥାନାନ୍ତରିତ ହେଇଯାଇଛି । ପୂର୍ବରୁ ଏହି ସହରଟି ବହୁ ଲୁଗାକଳ ଓ ବୟନଶିଳ୍ପ ପାଇଁ ପ୍ରସିଦ୍ଧ ଥିଲା, ତେଣୁ ବ୍ରିଟିଶମାନେ ଏହାକୁ "ମାଞ୍ଚେଷ୍ଟର ଅଫ ଇଷ୍ଟ" ବୋଲି ନା ଦେଇଥିଲେ । ସ୍ୱାଧୀନତା ସମୟରେ ଏହା ମହାତ୍ମା ଗାନ୍ଧୀ ଓ ସରଦାର ପଟେଲଙ୍କ କର୍ମଭୂମି ଥିଲା । ଗାନ୍ଧୀଜୀଙ୍କ ସାବରମତୀ ଆଶ୍ରମ ଅହମଦାବାଦର ଅନ୍ୟ ମୁଖ୍ୟ ପରିଚୟ ଅଟେ । ଅଧୁନା ଏହି ସହରଟି ଏକ ପ୍ରମୁଖ ଶିକ୍ଷା କେନ୍ଦ୍ର ଭାବେ ଗଢ଼ି ଉଠିଛି ।
କପିଳେନ୍ଦ୍ର ଦେବ (୧୪୩୫–୧୪୬୫, ଜନ୍ମ: କପିଳେନ୍ଦ୍ର ରାଉତ) ଜଣେ ଉତ୍କଳୀୟ ସମ୍ରାଟ ଥିଲେ । ତାଙ୍କ ସମୟରେ ଉତ୍କଳର ସୀମା ଉତ୍ତରରେ ଗଙ୍ଗା ନଦୀଠାରୁ ଦକ୍ଷିଣରେ କାବେରୀ ନଦୀ ପର୍ଯ୍ୟନ୍ତ ବିସ୍ତୃତ ଥିଲା ।ଯାଏଁ ଅଞ୍ଚଳ ଅଧୀକାର କରି "ଗଜପତି ଗୌଡେଶ୍ବର ନବକୋଟି କର୍ଣ୍ଣାଟ କଳବର୍ଗେଶ୍ୱର ଉପାଧୀ" ପାଇଥିଲେ । ସେ ସୂର୍ଯ୍ୟ ବଂଶର ପ୍ରତିଷ୍ଠାତା ତଥା ପ୍ରଥମ ନରପତି ଥିଲେ । "ଗୌଡ଼େଶ୍ବର"ର ଅର୍ଥ ଗୌଡ଼ ଅର୍ଥାତ୍ ବଙ୍ଗର ଅଧୀଶ୍ବର ଏବଂ "ନବକୋଟି କର୍ଣାଟ କଳବର୍ଗେଶ୍ୱର"ର ଅର୍ଥ କର୍ଣ୍ଣାଟ (ବିଜୟନଗର ସାମ୍ରାଜ୍ଯ) ଏବଂ କଳବର୍ଗ (ବାହମନୀ ସାମ୍ରାଜ୍ୟର ପୂର୍ବତନ ରାଜଧାନୀ ନାମ ଥିଲା ଗୁଲବର୍ଗା)ର ନଅକୋଟି ଅଧିବାସୀଙ୍କର ପ୍ରଭୁ । ସେ ନିଜକୁ ଜଗନ୍ନାଥଙ୍କ ପରମ ସେବକ ମଣୁଥିଲେ ଓ ଗଜପତି ଉପାଧିରେ ଭୂଷିତ କରିଥିଲେ ।
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଇସଲାମ (اَلْإِسْلَامُ - ଅଲ୍-ଇସ୍ଲାମ୍ - ଅର୍ଥାତ୍ ଈଶ୍ବରଙ୍କଠାରେ ସମର୍ପଣ) ଏକ ଏକେଶ୍ୱରବାଦୀ ଆବ୍ରାହମୀୟ ଧର୍ମ । ଏହାର ମୂଳ ଶିକ୍ଷା ହେଉଛି ଆଲ୍ଲା ଏକ ଏବଂ ଅଦ୍ୱିତୀୟ ତଥା ମହମ୍ମଦ ଈଶ୍ବରଙ୍କ ପୈଗମ୍ବର । ଇସଲାମ ଧର୍ମପନ୍ଥୀ ମୁସଲମାନ ଭାବେ ପରିଚିତ । ଏହାର ବିଶ୍ୱର ଦ୍ୱିତୀୟ ବୃହତ୍ତମ ଧର୍ମ ଏବଂ ଏଥିରେ ୧୮୦ କୋଟି ଲୋକ ଅଛନ୍ତି । ୪୯ଟି ଦେଶରେ ମୁସଲମାନମାନେ ସଂଖ୍ଯା ଗରିଷ୍ଠ ଅଛନ୍ତି । ଇସଲାମ ଶିକ୍ଷା ଦିଏ ଯେ - ଆଲ୍ଲା ଦୟାମୟ, ସର୍ବଶକ୍ତିମାନ ଏବଂ ଅଦ୍ୱିତୀୟ ତଥା ଭବିଷ୍ଯଦ୍ବକ୍ତା, ଗ୍ରନ୍ଥ ଏବଂ ପ୍ରାକୃତିକ ସଙ୍କେତଦ୍ୱାରା ମନୁଷ୍ଯମାନଙ୍କର ପଥପ୍ରଦର୍ଶନ କରିଥିଲେ । ଇସଲାମର ପ୍ରମୁଖ ଗ୍ରନ୍ଥ ହେଉଛି କୋରାନ - ଆଲ୍ଲାଙ୍କ ମୁଖ ନିଃସୃତ ବାଣୀ ତଥା ସୁନ୍ନାଃ - ପୈଗମ୍ବର ମହମ୍ମଦଙ୍କ ନୈତିକ ଶିକ୍ଷା ତଥା ଜୀବନୀ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
୨୦୧୪ ମସିହା ମାର୍ଚ୍ଚ ୧୧ରେ ଓଡ଼ିଆଭାଷାକୁ କେନ୍ଦ୍ର ସରକାର ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଥିଲେ । ତେଣୁ ପ୍ରତିବର୍ଷ ମାର୍ଚ୍ଚ ୧୧ ତାରିଖରେ ରାଜ୍ୟ ବ୍ୟାପୀ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଥିଲେ । ଶାସ୍ତ୍ରୀୟ ଭାଷା ଉପଦେଷ୍ଟା କମିଟିର ବୈଠକରେ ଏକ ନିଷ୍ପତ୍ତି ନିଆଯାଇଥିଲା । ଏହି ଅବସରରେ ଓଡ଼ିଆ ଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଂସ୍କୃତି ବିଭାଗ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଥିଲା ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଇଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ୱାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କଦ୍ୱାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ୱାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ମମଥା ମାବେନ (ଜନ୍ମ: ୧୫ ନଭେମ୍ବର ୧୯୭୦, ବେଙ୍ଗାଳୁରୁ, କର୍ଣ୍ଣାଟକ, ଭାରତ) ଜଣେ ଭାରତୀୟ ପୂର୍ବତନ ମହିଳା କ୍ରିକେଟର ଯିଏ ଏକ ଅଲ୍-ରାଉଣ୍ଡର ଭାବେ ଖେଳୁଥିଲେ। ସେ ଡାହାଣ ହାତର ବ୍ୟାଟର ଏବଂ ଡାହାଣ ହାତର ମିଡିୟମ୍-ପେସ୍ ବୋଲର ଥିଲେ। ସେ ୧୯୯୩ ରୁ ୨୦୦୪ ପର୍ଯ୍ୟନ୍ତ ଭାରତ ମହିଳା ଜାତୀୟ କ୍ରିକେଟ ଦଳ ପାଇଁ ଆନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ। ସେ ତାଙ୍କର କ୍ୟାରିୟର ସମୟରେ ୪ଟି ଟେଷ୍ଟ ମ୍ୟାଚ୍ ଏବଂ ୪୦ଟି ଏକଦିନିଆ ଆନ୍ତର୍ଜାତୀୟ (ODI) ମ୍ୟାଚ୍ ଖେଳିଥିଲେ। ସେ ୧୯୯୩ ମହିଳା କ୍ରିକେଟ ବିଶ୍ୱକପରେ ମଧ୍ୟ ଭାରତ ପକ୍ଷରୁ ଅଂଶଗ୍ରହଣ କରିଥିଲେ ଏବଂ ୨୦୦୩ ଓ ୨୦୦୪ ମସିହାରେ କିଛି ସମୟ ପାଇଁ ଭାରତୀୟ ଦଳର ନାୟିକା (କ୍ୟାପ୍ଟେନ୍) ଭାବେ କାମ କରିଥିଲେ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରିନା ଚୌଧୁରୀ ଜଣେ ଭାରତୀୟ ଅଭିନେତ୍ରୀ, ନିର୍ଦ୍ଦେଶିକା ଏବଂ ଲେଖିକା, ଯିଏ ପ୍ରାଧାନତଃ ବଙ୍ଗଳା ସିନେମା ସହ ସଂପୃକ୍ତ। ୧୯୯୦ ଦଶକରେ ଉତ୍ସାହିତ ଏବଂ ସ୍ପଷ୍ଟବକ୍ତା ଯୁବତୀଙ୍କ ଚରିତ୍ର ପ୍ରତିଚ୍ଛବି ପାଇଁ ସେ ସର୍ବାଧିକ ପରିଚିତ। ପ୍ରସିଦ୍ଧ ଚଳଚ୍ଚିତ୍ରକାର ତାଙ୍କ ପିତା ଅଞ୍ଜନ ଚୌଧୁରୀଙ୍କ ନିର୍ଦ୍ଦେଶନା ଓ ପ୍ରେରଣାରେ ତାଙ୍କର ବଙ୍ଗଳା ସିନେମା ଜୀବନ ଆରମ୍ଭ ହୋଇଥିଲା। ସେ ୧୯୮୪ ମସିହାର ବ୍ଲକବଷ୍ଟର ଚଳଚ୍ଚିତ୍ର ଶତ୍ରୁ ରେ ଶିଶୁ ଅଭିନେତ୍ରୀ ଭାବେ ଅଭିନୟ କରିଥିଲେ, ଯେଉଁଥିରେ ରଞ୍ଜିତ୍ ମଲ୍ଲିକ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଗ୍ରେଟ୍ ବ୍ରିଟେନ୍ ଓ ଉତ୍ତର ଆୟାର୍ଲ୍ଯାଣ୍ଡ୍ର ଯୁକ୍ତରାଜ୍ୟ, ବା ସାଧାରଣ ଭାବେ ଯୁକ୍ତରାଜ୍ୟ ଇଉରୋପୀୟ ମୂଳ ଭୂଖଣ୍ଡର ପଶ୍ଚିମ ଉପକୂଳରେ ଅବସ୍ଥିତ ଏକ ସାର୍ବଭୌମ ରାଷ୍ଟ୍ର ବା ରାଷ୍ଟ୍ରସଂଘ । ଯୁକ୍ତରାଜ୍ୟ ମଧ୍ୟରେ ଗ୍ରେଟ ବ୍ରିଟେନ ଦ୍ୱୀପ, ଆୟରଲ୍ୟାଣ୍ଡ ଦ୍ୱୀପର ଉତ୍ତରପୂର୍ବ ଭାଗ ଏବଂ ଅନେକ ଛୋଟ ଦ୍ୱୀପ ଅନ୍ତର୍ଭୁକ୍ତ । ଉତ୍ତର ଆୟରଲ୍ୟାଣ୍ଡ୍ ଓ ଆୟରଲ୍ୟାାଣ୍ଡ୍ ସାଧାରଣତନ୍ତ୍ର ମଝିରେ ସ୍ଥଳ ସୀମା ରହିଛି । ଏହାଛଡ଼ା ଯୁକ୍ତରାଜ୍ୟକୁ ଆଟଲାଣ୍ଟିକ ମହାସାଗର ଘେରିରହିଛି । ଏହାର ପୂର୍ବରେ ଉତ୍ତର ସମୁଦ୍ର, ଦକ୍ଷିଣରେ ଇଂରାଜୀ ପ୍ରଣାଳୀ ଏବଂ ଦକ୍ଷିଣ-ପଶ୍ଚିମରେ କେଲଟିକ ସାଗର ରହିଛି । ଏହାର ବେଳା ବିଶ୍ୱର ୧୨ତମ ଦୀର୍ଘ ଉପକୂଳ । ଆଇରିସ ସାଗର ଗ୍ରେଟ ବ୍ରିଟେନ ଏବଂ ଆୟରଲ୍ୟାଣ୍ଡକୁ ଅଲଗା କରିଥାଏ । ଯୁକ୍ତରାଜ୍ୟର ମୋଟ କ୍ଷେତ୍ରଫଳ ୨,୪୦,୦୦୦ ବର୍ଗ କି.ମି.
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ସୁସ୍ମିତା ବାଉରି (ଜନ୍ମ: ୫ ଜାନୁଆରୀ ୧୯୭୫) ଜଣେ ଭାରତୀୟ ରାଜନୀତିଜ୍ଞ । ସେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର କର୍ମକର୍ତ୍ତା ଭାବରେ ପଶ୍ଚିମ ବଙ୍ଗ ରାଜନୀତିରେ ସକ୍ରିୟ ଥିଲେ । ସେ ପଶ୍ଚିମ ବଙ୍ଗର ବିଷ୍ଣୁପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୨୦୦୪ ଓ ୨୦୦୯ ଭାରତୀୟ ସାଧାରଣ ନିର୍ବାଚନରେ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ଯଥାକ୍ରମେ ୧୪ଶ ଓ ୧୫ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସୁସାନ ବ୍ୟାସନେଟ ଜଣେ ଅନୁବାଦ ସିଦ୍ଧାନ୍ତବାଦୀ ଏବଂ ତୁଳନାତ୍ମକ ସାହିତ୍ୟର ବିଦ୍ୱାନ ଅଟନ୍ତି। ସେ ଦଶ ବର୍ଷ ପାଇଁ ୱାରୱିକ୍ ବିଶ୍ୱବିଦ୍ୟାଳୟରେ ପ୍ରୋ-ଭାଇସ ଚାନ୍ସେଲର ରୂପେ କାର୍ଯ କଲେ ଏବଂ ଏହାର ଅନୁବାଦ ତୁଳନାତ୍ମକ ସାଂସ୍କୃତିକ ଅଧ୍ୟୟନ କେନ୍ଦ୍ରରେ ପଢେଇଲେ, ଯାହା ୨୦୦୯ରେ ବନ୍ଦ ହୋଇଗଲା। ୨୦୧୬ ପର୍ଯ୍ୟନ୍ତ, ଗ୍ଲାସଗୋ ଏବଂ ୱରୱିକ୍ ବିଶ୍ୱବିଦ୍ୟାଳୟରେ ସେ ତୁଳନାତ୍ମକ ସାହିତ୍ୟର ଅଧ୍ୟାପକ ଥିଲେ। ୟୁରୋପରେ ଶିକ୍ଷିତ ହୋଇ ସେ ଇଟାଲୀରେ ନିଜର କ୍ୟାରିଅର ଆରମ୍ଭ କରିଥିଲେ ଏବଂ ୟୁନାଇଟେଡ ଷ୍ଟେଟର ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ। ୨୦୦୭ ମସିହାରେ, ସେ ରୟାଲ ସୋଶାଇଟୀ ଅଫ ଲିଟରେଚରର ସହକର୍ମୀ ଭାବେ ନିର୍ବାଚିତ ହୋଇଥିଲେ।
ଗାର୍ଗୀ ବାନାର୍ଜୀ (ଜନ୍ମ ୨୦ ଜୁଲାଇ ୧୯୬୧) ଜଣେ ପୂର୍ବତନ ଟେଷ୍ଟ ଏବଂ ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟର ଯିଏ ଭାରତର ପ୍ରତିନିଧିତ୍ୱ କରିଥିଲେ । ସେ ୧୬ ବର୍ଷ ବୟସରେ ଇଡେନ ଗାର୍ଡେନ୍ସରେ ୧୯୭୮ ବିଶ୍ୱକପରେ ଇଂଲଣ୍ଡ ବିପକ୍ଷରେ ଏକ ମ୍ୟାଚ୍ ଖେଳି ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ ଏବଂ ତାଙ୍କର ଅନ୍ତର୍ଜାତୀୟ ଖେଳ ପୂର୍ବରୁ ଭାରତର ଘରୋଇ ଲିଗ୍ରେ ପଶ୍ଚିମବଙ୍ଗ ପାଇଁ ଖେଳିଥିଲେ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ ।
ଦାସିଆ ବାଉରୀ ଶ୍ରୀ ଜଗନ୍ନାଥଙ୍କ ଜଣେ ପରମ ଭକ୍ତ । କେତେକ ଐତିହାସିକ ଓ ପୌରାଣିକ ତଥ୍ୟରୁ ଯାହା ଜଣାଯାଏ, ୧୫୦୦ ଶତାବ୍ଦୀ ବେଳକୁ ପୁରୀ ଜିଲ୍ଲାର ପିପିଲି ଅଞ୍ଚଳସ୍ଥ ବାଲିଗାଁରେ ଗୋଟିଏ ଗରୀବ ତନ୍ତୀ ପରିବାରରେ ଦାସିଆ ବାଉରୀ ଜନ୍ମଗ୍ରହଣ କରିଥିଲେ । ବାଲି ଗ୍ରାମର ଖଦାଳ ସାହିରେ ସେ ନିଜ ପରିବାର ସହ ବସବାସ କରୁଥିଲେ ।ବାଲ୍ୟ କାଳରୁ ହିଁ ସେ ଜଣେ ଜଗନ୍ନାଥ ପ୍ରେମୀ ଥିଲେ । ନିଜ ପରିବାରର ପାରମ୍ପରିକ ବୁଣାକାର ବୃତ୍ତି ବ୍ୟତୀତ, ଜଗନ୍ନାଥ ଭଜନ ଓ ଜଣାଣ ଲେଖିବାରେ ମଧ୍ୟ ତାଙ୍କର ରୁଚିଥିଲା । ଏହା ବ୍ୟତୀତ ସେ ଭାଗବତ, ଚଉତିସା ଓ ଭକ୍ତି ମାଳିକା ଭଳି ଗ୍ରନ୍ଥ ମଧ୍ୟ ରଚନା କରିଥିଲେ ।
ଅରୁନ୍ଧତୀ କିରକିରେ (ହିନ୍ଦୀ: अरुंधति किरकिरे; ଜନ୍ମ: ୩୧ ମଇ ୧୯୮୦, ଇନ୍ଦୋର, ଭାରତ) ଜଣେ ଭାରତୀୟ ପୂର୍ବତନ ମହିଳା କ୍ରିକେଟର। ସେ ଭାରତ ମହିଳା ଜାତୀୟ କ୍ରିକେଟ ଦଳ ପାଇଁ ୨୦୦୦ ରୁ ୨୦୦୫ ପର୍ଯ୍ୟନ୍ତ ଆନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ। ସେ ଡାହାଣ ହାତର ବ୍ୟାଟର ଥିଲେ ଏବଂ ଅବସର ସମୟରେ ୱିକେଟ୍-କିପର ଭାବେ ମଧ୍ୟ ଖେଳୁଥିଲେ। ତାଙ୍କର ସ୍ଥିର ବ୍ୟାଟିଂ ଓ ଦଳକୁ ଦରକାର ସମୟରେ ଅବଦାନ ଦେବା ଦକ୍ଷତା ତାଙ୍କୁ ଭାରତୀୟ ମହିଳା କ୍ରିକେଟରେ ପରିଚିତ କରିଥିଲା।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .