ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଶା ( ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଫୁଲ ମଧ୍ୟରେ ଆକର୍ଷଣର କେନ୍ଦ୍ରବିନ୍ଦୁ ଗୋଲାପ । ଗୋଲାପ ହେଉଛି ବର୍ଷବ୍ୟାପୀ ବଞ୍ଚିପାରୁଥିବା ଏକ ଦୀର୍ଘସ୍ଥାୟୀ ପୁଷ୍ପ ଉଦ୍ଭିଦ ।ଏହା ରୋଜା ପ୍ରଜାତିର ଏବଂ ରୋଜାସି ପରିବାର ଅନ୍ତର୍ଭୁକ୍ତ । ୧୦୦ଟି ସମଜାତୀୟ ଗୋଲାପ ବର୍ଗ ମଧ୍ୟରେ କେବଳ ରଙ୍ଗର ଭିନ୍ନତା ଦେଖିବାକୁ ମିଳେ । ରୋଜ୍ର ନାମକରଣ ଫରାସୀ ଭାଷାରୁ ହୋଇଛି, ଯାହାକି ମୂଳ ଲାଟିନ୍ ଭାଷାର ରୋଜା ଶବ୍ଦରୁ ଉଦ୍ଭବ ।ରୋଜା ଶବ୍ଦ ଗ୍ରୀକ ଭାଷାର ରୋଡିୟମରୁ ଆସିଥିବାର ଜଣାଯାଏ । ଗୋଲାପର ସୌନ୍ଦର୍ଯ୍ୟ ଓ ସୌରଭ ବିଶ୍ୱର ସବୁଆଡେ ବ୍ୟାପକ ଭାବେ ଆଦୃତି ଲାଭ କରାଇଛି । ଅଧିକାଂଶ ଗୋଲାପର ଉତ୍ପତ୍ତି ଏସିଆରୁ ହୋଇଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପେଟ୍ରିକିଭକା ଚିତ୍ରକଳା (କିମ୍ବା ସରଳ ଭାବରେ "ପେଟ୍ରିକିଭକା" ; ୟୁକ୍ରେନୀୟ : Петриківський розпис ) ଏକ ପାରମ୍ପରିକ ୟୁକ୍ରେନୀୟ ସାଜସଜ୍ଜା ଚିତ୍ରକଳା ଶୈଳୀ, ଯାହା ୟୁକ୍ରେନର ଡ୍ନିପ୍ରୋପେଟ୍ରୋଭସ୍କ ଓବ୍ଲାଷ୍ଟର ପେଟ୍ରିକିଭକା ଗ୍ରାମୀଣ ବସତିରୁ ଉତ୍ପନ୍ନ , ଯେଉଁଠାରେ ଏହାକୁ ପାରମ୍ପରିକ ଭାବରେ ଘର କାନ୍ଥ ଏବଂ ଦୈନନ୍ଦିନ ଘରୋଇ ଜିନିଷପତ୍ର ସଜାଇବା ପାଇଁ ବ୍ୟବହୃତ ହେଉଥିଲା। ଏହି ଶୈଳୀର ସର୍ବପ୍ରଥମେ ଜଣାଶୁଣା ଉଦାହରଣ 18 ଶତାବ୍ଦୀର, କିନ୍ତୁ ଏହା ଏକ ଆଧୁନିକ କଳା ଭାବରେ ଉନ୍ନତି ଏବଂ ବିକାଶ କରିବାରେ ଜାରି ରହିଛି।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ମୟୁର କର୍ଷକ ବର୍ଗର ଏକ ପକ୍ଷୀ ବିଶେଷ । ମୟୂର ପ୍ରଜାତିର ପୁରୁଷପକ୍ଷୀକୁ ମୟୂର ଓ ସ୍ତ୍ରୀ ପକ୍ଷୀକୁ ମୟୂରୀ କୁହାଯାଏ । ମୟୂରର ଲାଞ୍ଜ ଖୁବ ବଡ଼ ହୋଇଥିବାରୁ ତାହାକୁ ଲୋକୋକ୍ତିରେ ଲଞ୍ଜା ମୟୁର ଏବଂ ମୟୂରୀର ଲାଞ୍ଜ ଛୋଟ ହେଇଥିବାରୁ ତାହାକୁ ଲାଣ୍ଡୀ ମୟୂର ବୋଲି ମଧ୍ୟ କୁହାଯାଏ । ମୟୂରର ଲାଞ୍ଜର ବଡ଼ ପକ୍ଷ ଓ କଣ୍ଠର କ୍ଷୁଦ୍ର ପର ନାନା ବର୍ଣ୍ଣରେ ରଞ୍ଜିତ । ମୟୂରୀର ପରର ରଙ୍ଗ ମୟୁର ତୁଳନାରେ ଅପେକ୍ଷା କୃତ ମ୍ଲାନ ହେଲେହେଁ ମୟୂର ପରି ମୟୂରୀ ମଧ୍ୟ ସମମାତ୍ରାରେ ଆକର୍ଷଣୀୟ । ଏଣୁ ଏହି ପକ୍ଷୀ ପ୍ରଜାତି କାଳେ କାଳେ ବିଶ୍ୱର ବିହଙ୍ଗ ବିବିଧତା ମଧ୍ୟରେ ପ୍ରମୁଖତା ପାଇଆସିଛି। । ଏହା ସଂସ୍କୃତ ମି ଧାତୁରୁ ଉର୍ ପ୍ରତ୍ୟୟଦ୍ୱାରା ନିଷ୍ପନ୍ନ । ମିର ଅର୍ଥ କ୍ଷେପଣକରିବା ବୋଲି ଭାଷାକୋଷ ଲେଖିଥିଲେହେଁ ଏହାର ପ୍ରକୃତ ଅର୍ଥ ମାରିପକାଇବା । ମୟୂରର ଏକ ବିଶେଷତ୍ୱ ହେଉଛି, ପ୍ରାଣନାଶକାରୀ ବିଷଧର ସର୍ପକୁ ସେ ମାରିପକାଏ । ସେଥିପାଇଁ ହିଁ ମି ଧାତୁର ଉର୍ ପ୍ରତ୍ୟୟ ଯୋଗରେ ମୟୁର ଶବ୍ଦର ସୃଷ୍ଟି ହୋଇଛି । ଭାଷାକୋଷ ଅନୁସାରେ ମୟୂରର ଅନ୍ୟନାମ କେକୀ, ଶିଖି, ଶିଖଣ୍ଡୀ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସୋଫିଆ ଆଲମ୍ ଜଣେ ଓଡ଼ିଆ ଅଭିନେତ୍ରୀ, ଯିଏକି ମୁଖ୍ୟତଃ ଓଡ଼ିଆ କଥାଚିତ୍ର ଏବଂ ଧାରାବାହିକରେ ଅଭିନୟ କରନ୍ତି । ସୋଫିଆ ଆଲାମ ପ୍ରଥମେ ଓଡ଼ିଆ ଦୂରଦର୍ଶନ ଧାରାବାହିକରେ ଅଭିନୟ କରିବା ଆରମ୍ଭ କରିଥିଲେ । ଡିଡି ଓଡ଼ିଆରେ ପ୍ରସାରିତ ଧାରାବାହିକ ବିଧାତାର ଖେଳ ଜରିଆରେ ସେ ଅଭିନୟ ଜୀବନ ଆରମ୍ଭ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ସେ ଦୁହିତା, ମହାଯଜ୍ଞ ଭଳି ଲୋକପ୍ରିୟ ଧାରାବାହିକର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଏଥିସହିତ ସେ ଭାଗ୍ୟ ବିଧାତା, ଗାୟତ୍ରୀ, ସଂସ୍କାର ଭଳି ଧାରାବାହିକରେ ଚରିତ୍ର ଅଭିନେତ୍ରୀ ଭାବରେ ଅଭିନୟ କରିଥିଲେ । ୨୦୦୯ ମସିହାରେ ସେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ ଓଡ଼ିଆ କଥାଚିତ୍ର ଥିଲା ଡ୍ରିମ୍ ଗାର୍ଲ । ପରେ ସେ ସୁନା ଚଢ଼େଇ ମୋ ରୂପା ଚଢ଼େଇ, ଏସିପି ରଣବୀର, ଗଞ୍ଜା ଲଢ଼େଇ, ପ୍ରେମ ସବୁଠୁ ବଳବାନ, ଆଶିକ୍ ଭଳି ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବନ୍ଦେ ଉତ୍କଳ ଜନନୀ (ଓଡ଼ିଆ କଥାଚିତ୍ର)
ବନ୍ଦେ ଉତ୍କଳ ଜନନୀ, ୨୦୦୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରଗତି ମହାନ୍ତି ଏବଂ ଦେବାଶିଷ ଡୋଗ୍ରା । ହର ବାରିକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଶୁଭେନ୍ଦୁ ସ୍ୱାଇଁ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
କୋଣାର୍କ ଏକ୍ସପ୍ରେସ, ଏକ ଶ୍ରେଣୀବିହୀନ ସୁପର ଫାଷ୍ଟ ରେଳଗାଡ଼ି ଯାହା ସିକନ୍ଦରାବାଦରୁ ଭୁବନେଶ୍ୱର ପର୍ଯ୍ୟନ୍ତ ୧୯୭୮ ମସିହାରେ ଦୈନିକ ଯାତାୟତ କରୁଥିଲା । ଏହା ତତ୍କାଳୀନ ଭାରତୀୟ ରେଳ ମନ୍ତ୍ରୀ ମଧୁ ଦଣ୍ଡବତେଙ୍କଦ୍ୱାରା ଆରମ୍ଭ କରାହୋଇଥିଲା । ଭୁବନେଶ୍ୱରରୁ ମୁମ୍ବାଇ ଯାଉଥିବା ମିନାର ଏକ୍ସପ୍ରେସ ସହ ସଂଯୁକ୍ତ ହେଇ ଯାଉଥିବା ଏହି ଟ୍ରେନଟି ୧୯୯୪ରୁ ସ୍ୱତନ୍ତ୍ର ଭାବେ ମୁମ୍ବାଇ ପର୍ଯ୍ୟନ୍ତ ପରିବର୍ଧିତ ହୋଇ ଦୈନିକ ଯାତ୍ରା କରୁଛି । ଏହା ପୂର୍ବ ଓ ପଶ୍ଚିମ ଭାରତକୁ ସଂଯୋଗ କରୁଥିବା ଏକ ସର୍ବ ପୁରାତନ ସୁପରଫାଷ୍ଟ ଟ୍ରେନ । ଏହି ଟ୍ରେନ, (ଟ୍ରେନ# ୧୧୦୨୦) ଭୁବନେଶ୍ୱରରୁ ଦୈନିକ ଅପରାହ୍ନ ୩ଟା ୨୫ ମିନିଟରେ ଏବଂ (ଟ୍ରେନ# ୧୧୦୧୯) ମୁମ୍ବାଇର ଛତ୍ରପତି ଶିବାଜୀ ଟର୍ମିନସଠାରୁ ଦୈନିକ ଅପରାହ୍ନ ୩ଟା ୫୦ ମିନିଟରେ ଛାଡ଼ିଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଲବ ବା ଲବ୍(ସଂସ୍କୃତ: लव meaning particle, Kannada: ಲವ, Telugu: లవుడు, Tamil: இலவன், Malay: Tilawi, Indonesian: Lawa, Khmer: Jupalaks, Lao: Phra Lao, Assamese: Laba, Thai: Phra Lop/พระลพ) ଓ ତାଙ୍କର ଯାଁଳା ଭାଇ କୁଶ ହିନ୍ଦୁ ମହାପୁରାଣ ରାମାୟଣରେ ବର୍ଣିତ ମୁଖ୍ୟ ଚରିତ୍ର ରାମ ଓ ସୀତାଙ୍କ ପୁତ୍ର ଥିଲେ । ଉଭୟ ଯାଁଳା ଭାଇ ହେଇଥିଲେ ମଧ୍ୟ କୁଶ ପ୍ରଥମେ ଜନ୍ମ ହେଇଥିବାରୁ ସେ ବଡ ବୋଲି ଧରାଯାଇଥାଏ । ଲବ ତାଙ୍କ ପିତା ରାମ ମକା ଚେହେରା ଭଳି ଆସିଥିବା ବେଳେ ଈଷତ ନୀଳ ବରଣର ଥିଲେ ଓ କୁଶ ମାତା ସିତାଙ୍କ ପରି ସଫେଦ ରଙ୍ଗ ଗ୍ରହଣ କରି ତାଙ୍କ ଚେହେରାର ଚାପ ରେ ଥିଲେ । ଲବ ପରେ 'ଲବପୁରୀ' ରାଜ୍ୟ ସ୍ଥାପନ କାରିୟହିବାର ବର୍ଣ୍ଣନା ରହିଛି । , ସେଇ ଲବପୁରକୁ ଆଧୁନିକ ଲାହୋରେ ସହର ( ପାକିସ୍ଥାନରେ ବର୍ତ୍ତମାନ ଅବସ୍ଥିତ ) ବୋଇ କୁହାଯାଏ ।, ଏହା ତାଙ୍କ ନାମରେ ନମିତା ହେଇଥିଲା । . ଦକ୍ଷିଣ ଏସିୟ ରାଜ୍ୟ ଲାଓସ ଓ ଥାଇଲ୍ଯାନ୍ଡର ସହର ଲପବୁରି ମଧ୍ୟ ତାଙ୍କ ନାମାନୁସାରେ ନମିତା ହେଇଥିବାର ଇତିହାସ କୁହେ । ଇଣ୍ଡୋ- ଆର୍ଜନ ବଂଶର ଶିକାରବାର ରାଜପୁତ , ଆବଢିୟା ଜାତି , ଓ ଲେନା ପତିଦାର ବଂଶ ଲବଙ୍କ ବାନ୍ଶୋଜ ହେଇଥିବାର ଦାବି କରନ୍ତି । ଲବ ମୂଳତଃପ୍ରାଚୀନ ଭାରତର ଇଚ୍ଛାକୁ କୁଳ ଓ ସୂର୍ଯ୍ୟବଂଶୀ ହେଇଥିବାର ଜଣା ଯାଏ । .
କୋସିଭ ପେଣ୍ଟେଡ୍ ସିରାମିକ୍ସ ହେଉଛି ପାରମ୍ପରିକ ଜାତୀୟ ହୁଟସୁଲ ହସ୍ତଶିଳ୍ପ, ୟୁକ୍ରେନୀୟ ସିରାମିକ୍ସର ଏକ ପ୍ରକାର । ଏହା ବିଭିନ୍ନ ଟେବୁଲୱାୟାର, ପିଲାମାନଙ୍କ ଖେଳଣା, ସ୍ମାରକୀ, ଚୁଲି ଟାଇଲ୍ସ, ସାଜସଜ୍ଜା ଟାଇଲ୍ସ ଭଳି ମାଟି ସାମଗ୍ରୀ ପାଇଁ ଜଣାଶୁଣା। ଏହା ଏକ ଜଟିଳ ଉତ୍ପାଦନ ପ୍ରଯୁକ୍ତିବିଦ୍ୟା ଏବଂ ବିଶେଷ ଚିତ୍ର ଦ୍ୱାରା ଭିନ୍ନ। ପାରମ୍ପରିକ ଭାବରେ, ପିଷ୍ଟିନ୍ ଗ୍ରାମର ସିରାମିକ୍ସ ମଧ୍ୟ କୋସିଭ ସିରାମିକ୍ସରେ ଅନ୍ତର୍ଭୁକ୍ତ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ମନୁ ଭାକର ଜଣେ ଭାରତୀୟ ବନ୍ଧୁକ ଚାଳିକା । ୨୦୨୪ ପ୍ୟାରିସ୍ ଅପମ୍ପିକ୍ସରେ, ସେ ମହିଳା ବିଭାଗର ୧୦ ମିଟର ଏଆର ପିସ୍ତଲ ମହିଳା ଏକଳ ଏବଂ ୧୦ ମିଟର ଏଆର ପିସ୍ତଲ ମିକ୍ସଡ଼ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଥିଲେ । ମିକ୍ସଡ଼ ପ୍ରତିଯୋଗିତାରେ ତାଙ୍କର ସାଥି ଖେଳାଳି ଥିଲେ ସରବଜୋତ ସିଂହ । ସେ ୨୦୧୮ ଆଇ.ଏସ୍.ଏସ୍.ଏଫ୍.ବିଶ୍ୱକପରେ ଭାରତ ତରଫରୁ ପ୍ରତିନିଧିତ୍ୱ କରି ଦୁଇଟି ସ୍ୱର୍ଣ୍ଣ ପଦକ ଜିତିଥିଲେ । ସେ ଆଇ.ଏସ୍.ଏସ୍.ଏଫ୍.
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭାରତର ପଶ୍ଚିମ କୂଳରେସ୍ଥିତ ମୁମ୍ବାଇ (ପୂର୍ବ ନାମ ବମ୍ବେ), ଭାରତୀୟ ରାଜ୍ୟ ମହାରାଷ୍ଟ୍ରର ରାଜଧାନୀ । ଏହାର ଆନୁମାନିକ ଜନସଂଖ୍ୟା ୩ କୋଟି ୨୧ ଲକ୍ଷ, ଯାହାକି ଦେଶର ସର୍ବାଧିକ ଜନସଂଖ୍ୟା ଥିବା ସହର । ଏହାର ଉତ୍ପତ୍ତି ଲାଭାରୁ ନିର୍ଗତ ୭ଟି ଛୋଟ ଛୋଟ ଦ୍ୱୀପପୁଞ୍ଜକୁ ମିଶାଇ ହୋଇଛି, ଯାହା ମୂଳ ଭାରତୀୟ ଭୂଖଣ୍ଡକୁ ଏକ ପୋଲଦ୍ୱାରା ଯୋଡି ହୋଇଛି। ମୁମ୍ବାଇ ବନ୍ଦର ଭାରତର ସର୍ବଶ୍ରେଷ୍ଠ ସାମୁଦ୍ରିକ ବନ୍ଦର । ମୁମ୍ବାଇର ଉପକୂଳରେ ଫାଟ ଥିବାରୁ ଏହାର ପୋତାଶ୍ରୟ ପ୍ରକୃତିକ ଓ ସୁରକ୍ଷିତ । ଇଉରୋପ, ଆଫ୍ରିକା, ଆମେରିକା ଆଦି ପାଶ୍ଚାତ୍ୟ ଦେଶରୁ ଜଳମାର୍ଗ କିମ୍ବା ଆକାଶମାର୍ଗରୁ ଆସୁଥିବା ଯାତ୍ରୀ ସର୍ବପ୍ରଥମେ ମୁମ୍ବାଇ ଆସୁଥିବାରୁ, ମୁମ୍ବାଇକୁ ଭାରତର ପ୍ରବେଶଦ୍ୱାର ମଧ୍ୟ କୁହାଯାଏ।
ସିଲେରୁ ନଦୀ ଭାରତୀୟ ନଦୀ ସାବରି ନଦୀର ଏକ ଶାଖା ନଦୀ । ଏହା ଆନ୍ଧ୍ରପ୍ରଦେଶରୁ ବାହାରି ଓଡ଼ିଶା ରାଜ୍ୟ ଦେଇ ପ୍ରବାହିତ ହେଲା ପରେ ସାବରି ନଦୀରେ ମିଳିତ ହୁଏ ଓ ସାବରି ନଦୀ ପୁନଶ୍ଚ ଆନ୍ଧ୍ରପ୍ରଦେଶକୁ ପ୍ରବେଶ କରି ଗୋଦାବରୀ ନଦୀ ସହ ମିଳିତ ହୁଏ । ସିଲେରୁ ନଦୀ ଉପର ଅଞ୍ଚଳରେ ମାଛକୁଣ୍ଡ ନାମରେ ପରିଚିତ ହୋଇ ଓଡ଼ିଶା, ଆନ୍ଧ୍ର ପ୍ରଦେଶ ଓ ଓ ଛତିଶଗଡ଼ର ତ୍ରିଯୁକ୍ତ ସ୍ଥାନରେ ସାବରି ନଦୀ ସହ ମିଳିତ ହେଇଥାଏ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ମେନିଞ୍ଜାଇଟିସ ଏକ ରୋଗ ଯାହା ମସ୍ତିଷ୍କ ଓ ମେରୁଦଣ୍ଡର ସୁରକ୍ଷାକାରୀ ଆବରଣ ମେନିଞ୍ଜେସର ପ୍ରଦାହକୁ କୁହାଯାଏ । ଜ୍ୱର, ମୁଣ୍ଡବଥା ଓ ଦୃଢ଼଼ ବେକ ଆଦି ଲକ୍ଷଣ ଏହି ରୋଗରେ ଦେଖାଯାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଦ୍ୱନ୍ଦ୍ୱ ଓ ପରିବର୍ତ୍ତିତ ଚେତନା, ବାନ୍ତି ଓ ଆଲୋକ ଭୀତି ବା ଶବ୍ଦ ଭୀତି ମଧ୍ୟ ପ୍ରକାଶ ପାଏ । ଅଳ୍ପ ବୟସ୍କ ପିଲାମାନଙ୍କର ଅନିର୍ଦ୍ଦିଷ୍ଟ ଲକ୍ଷଣ ଯେପରିକି ଚିଡ଼ିଚିଡ଼ା ଭାବ, ଢୁଳ ଲାଗିବା ଓ କମ୍ ଖାଇବା ଆଦି ଦେଖାଯାଏ । ମେନିଙ୍ଗୋକୋକାଲ ମେନିଞ୍ଜାଇଟିସ ହୋଇଥିଲେ ଏକ ନିର୍ଦ୍ଦିଷ୍ଟ ଧରଣର ରାସ୍ ଦେଖାଯାଏ ।
ସଞ୍ଜୁ ବିଶ୍ୱନାଥ ସାମସନ (ଜନ୍ମ : ୧୧ ନଭେମ୍ବର ୧୯୯୪), ଜଣେ ଭାରତୀୟ କ୍ରିକେଟ ଖେଳାଳି । ସେ କେରଳ ରାଜ୍ୟ ପାଇଁ ରଣଜୀ ଟ୍ରଫି ଖେଳନ୍ତି ଓ ଏହାର ସର୍ବକନିଷ୍ଠ ଅଧିନାୟକ ହେବାର ଗୌରବର ଅଧିକାରୀ । ସେ ଜଣେ ୱିକେଟ କିପର ବ୍ୟାଟସ ମେନ ଭାବରେ ଖେଳନ୍ତି । ସେ ଆଇପିଏଲରେ ଦିଲ୍ଲୀ ଦଳ ପାଇଁ ଖେଳିବା ସହ ଭାରତୀୟ ଜାତୀୟ ଦଳ ପାଇଁ ଟି୨୦ ଅନ୍ତର୍ଜାତିୟ ମ୍ୟାଚ ଖେଳିଛନ୍ତି । ସେ ଆଇପିଏଲରେ ସର୍ବକନିଷ୍ଠ ଖେଳାଳି ଭାବରେ ୧୦୦୦ ରନ କରିବା ସହ ରଣଜୀ ଟ୍ରଫିରେ ୨ ଥର ଦ୍ୱିଶତକ ହାସଲ କରିଛନ୍ତି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଚୈତ୍ର ପୂର୍ଣ୍ଣିମା (ଚଇତିପୁନେଇଁ ଓ ଚଇତ ପୁନେଇଁ ନାମରେ ମଧ୍ୟ ଜଣା) ଓଡ଼ିଶାର ଏକ ଗଣପର୍ବ । ଏହା କେଉଟ ଜାତିର ଲୋକଙ୍କଦ୍ୱାରା ଚୈତ୍ର ମାସ ପୂର୍ଣ୍ଣମୀ ତିଥିରେ (ମାର୍ଚ୍ଚ-ଅପ୍ରେଲ ଭିତରେ) ପାଳିତ ହୋଇଥାଏ । କେଉଟମାନେ ଘୋଡ଼ାର ଏକ ଖୋଳ କରି ସେଥିରେ ପଶି ଘୋଡ଼ା ଚଢ଼ିବାର ଅଭିନୟ କରିଥାନ୍ତି । ଏହା ଚଇତିଘୋଡ଼ା ନାଚ ନାମରେ ଜଣା । ପୂର୍ଣ୍ଣମୀର ପୂର୍ବ ଆଠ ଦିନ ଧରି "ଚଇତି ପର୍ବ" ପାଳନ କରାଯାଏ । ଆଦିବାସୀମାନେ ଏହି ପର୍ବରେ ଦିନ ରାତି ବ୍ୟାପୀ ଭୋଜିଭାତ, ନାଚ, ଶିକାର ଆଦି କରିଥାନ୍ତି । ଘରର ମୁଖ୍ୟ ଏହିଦିନ ପୂର୍ବପୁରୁଷମାନଙ୍କୁ ଶ୍ରାଦ୍ଧ ଦେଇଥାନ୍ତି । ଘରର ପ୍ରତ୍ୟେକ ସଦସ୍ୟ ନୂତନ ବସ୍ତ୍ର ପରିଧାନ ପୂର୍ବକ ଏଥିରେ ଅଂଶଗ୍ରହଣ କରିଥାନ୍ତି । ଏହି ଦିନ ପଶୁବଳି ଦେବା ବିଧି ମଧ୍ୟ କିଛି ସମ୍ପ୍ରଦାୟରେ ରହିଛି । ବର୍ଷର ପ୍ରଥମ ପାଚିଲା ଆମ୍ବ ଲୋକେ ଏଇ ଦିନ ଖାଇଥାନ୍ତି । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଦଣ୍ଡ ନାଚ ଓ "ଚଇତିଘୋଡ଼ା ନାଚ" ଅନୁଷ୍ଠିତ ହୋଇଥାଏ । ଏହା ଉଭୟ ଆଦିବାସୀ ଓ ଅଣଆଦିବାସୀମାନେ ପାଳିଥାନ୍ତି ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ସିଙ୍ଗଡ଼ା (ସମୋସା ବା ସାମୂସା ନାମରେ ମଧ୍ୟ ଜଣା) ଏକ ପୁର ଦିଆ ହେଇଥିବା ଓ ତେଲରେ ଛଣାଯାଇଥିବା ଖାଦ୍ୟ । ଏଥିରେ ଭିତରେ ପୁର ସାଧାରଣତଃ ମସଲାଯୁକ୍ତ ଭଜା ହେଇଥିବା ଆଲୁ , ପିଆଜ , ବାଦାମ ଆଦି ସହ ସ୍ଥଳ ବିଶେଷରେ କିମା କରାଯାଇଥିବା ମାଂସ ମଧ୍ୟ ଦିଆଯାଇଥାଏ । ସିଙ୍ଗଡ଼ା ସାଧାରଣତଃ ତ୍ରିକୋଣୀୟ ଆକୃତିର ହେଇଥାଏ । ଚତୁର୍ସ୍କୋଣୀୟ ବା ବହୁ କୋଣୀୟ ସିଙ୍ଗଡ଼ା ମଧ୍ୟ ଦେଖା ଯାଏ । ଭାରତରେ ସାଧାରଣତଃ ନିରାମିଷ ସିଙ୍ଗଡ଼ାର ପ୍ରଚାଳନ ହୁଏ । ଏହି ସିଙ୍ଗଡ଼ାକୁ ବିଭିନ୍ନ ପ୍ରକାର ଚଟଣି ସହ ଖିଆ ଯାଇଥାଏ । ସାରା ଭାରତର ସମସ୍ତ ରାଜ୍ୟ ସହ ଏସିଆର ବିଭିନ୍ନ ଦେଶ ତଥା ପୃଥିବୀର ଅନ୍ୟ ଦେଶମାନଙ୍କରେ ସିଙ୍ଗଡ଼ାର ବିଭିନ୍ନ ପ୍ରକାରଭେଦ ସହ ପ୍ରଚବଥପତଳନ ରହିଛି ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷାର ସାମୁହିକ ବ୍ୟବହାର ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ଓଡ଼ିଆ ଭାଷା ଆନ୍ଦୋଳନ ନାମରେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ଼ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ । କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ଦାର୍ଶନିକ ହୁଏନସାଂ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ହୋମଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ହୋମ ଧୂଆଁ ବିଷୟରେ ବର୍ଣ୍ଣନା କରିଛନ୍ତି । ଉତ୍କଳ ବ୍ରାହ୍ମଣମାନଙ୍କର କିଛି ଉପନାମ ଦାଶ, ମିଶ୍ର, ରଥ, କର, ଆଚାର୍ଯ୍ୟ, ତ୍ରିପାଠୀ, ଷଡ଼ଙ୍ଗୀ, ଶର୍ମା, ଦାଶଶର୍ମା, ରଥଶର୍ମା, ନନ୍ଦ, ପଣ୍ଡା, ପାଢୀ, ପାଣି, ପାଣିଗ୍ରାହୀ, ପୁଜାପଣ୍ଡା, ବଡ଼ପଣ୍ଡା, ମହାପାତ୍ର, ଶତପଥୀ, ଓତା ଓ ହୋତା ଇତ୍ୟାଦି ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।