ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଚାଖି ଖୁଣ୍ଟିଆ (ଅନ୍ୟ ନାମ: ଚନ୍ଦନ ହଜୁରୀ, ୧୮୨୭ - ୧୮୭୦) ଓଡ଼ିଶାର ଜନ୍ମିତ ଓ ସିପାହୀ ବିଦ୍ରୋହରେ ନେତୃତ୍ତ୍ୱ ନେଇଥିବା ଜଣେ ଯୋଦ୍ଧା । ସେ ପୁରୀ ଜଗନ୍ନାଥ ମନ୍ଦିରକୁ ଆସୁଥିବା ନେପାଳୀ ଭକ୍ତମାନଙ୍କର ପଣ୍ଡା ଥିଲେ । ୧୮୫୭ ମସିହାରେ ସିପାହୀ ବିଦ୍ରୋହ ବେଳେ ସେ ଉତ୍ତର-ପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରିଥିଲେ । ପରେ ସେ ଧରାପଡ଼ି ବ୍ରିଟିଶମାନଙ୍କଦ୍ୱାରା ନିହତ ହୋଇଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ହେଉଛି ବିଶ୍ୱର ବିଭିନ୍ନ ସଦସ୍ୟ ଦେସ ମାନଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଉପରେ ପାରସ୍ପରିକ ସହଯୋଗ ଏବଂ ମାନକ ବିକାଶ ପାଇଁ ଏକ ସଂଗଠନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନରେ ୧୯୩ଟି ସଦସ୍ୟ ରାଷ୍ଟ୍ର ଏବଂ ଦୁଇଟି ଅନୁବନ୍ଧିତ ସଦସ୍ୟ ଅଛନ୍ତି । ମିଳିତ ଜାତିସଂଘ ସଂଗଠନର ଏହା ଏକ ସହାୟକ ସଂସ୍ଥା ଅଟେ । ଏହି ସଂଗଠନ ୭ ଏପ୍ରିଲ ୧୯୪୮ରେ ପ୍ରତିଷ୍ଠିତ ହୋଇଥିଲା । ସେଥିପାଇଁ ପ୍ରତିବର୍ଷ ୭ ଏପ୍ରିଲକୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଭାବେ ପାଳନ କରାଯାଏ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଶା ( ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ୟୁକ୍ରେନୀୟ ଖାଦ୍ୟପରମ୍ପରା ୟୁକ୍ରେନର ବିଭିନ୍ନ ଅଞ୍ଚଳରେ ଉଦ୍ଭବିତ ହୋଇଥିବା ସମୃଦ୍ଧ ଓ ବିବିଧ ରାନ୍ଧଣା ପ୍ରଥାମାନଙ୍କର ସମନ୍ୱୟ। ୟୁକ୍ରେନ ୟୁରୋପର ସବୁଠାରୁ ବଡ଼ ଓ ଜନବହୁଳ ଦେଶମାନଙ୍କ ମଧ୍ୟରୁ ଗୋଟିଏ ହେବାରୁ, ସେଥିର ଖାଦ୍ୟପରମ୍ପରା ମଧ୍ୟ ଭୌଗୋଳିକ, କୃଷି ଓ ସାମାଜିକ ପରିବେଶର ଗଭୀର ପ୍ରଭାବ ବହନ କରେ। ବିଶେଷତଃ ଦେଶର ଉର୍ବର କଳା ମାଟି—ଚୋର୍ନୋଜେମ୍—ଏହି ଖାଦ୍ୟପଦ୍ଧତିର ମୂଳ ଉପାଦାନ ଯଥା ଶସ୍ୟ, ଶାକସବ୍ଜି ଓ ଅନ୍ୟାନ୍ୟ କୃଷିଜ ପଦାର୍ଥର ପ୍ରଚୁର ଉତ୍ପାଦନକୁ ସମ୍ଭବ କରିଛି ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
କୁପୋଷଣ (ଅପପୁଷ୍ଟି ବା ପୁଷ୍ଟିମାନ୍ଦ୍ୟ ନାମରେ ମଧ୍ୟ ଜଣା, ଇଂରାଜୀ: Malnutrition ବା malnourishment) ଏକ ସ୍ୱାସ୍ଥ୍ୟ ସମସ୍ୟା ଅବସ୍ଥା ଯାହା ଯଥେଷ୍ଟ ପୋଷକ ନ ଥିବା କିମ୍ବା ମାତ୍ରାଧିକ ପୋଷକ ଥିବା ଖାଦ୍ୟ ଖାଇବା ଫଳରେ ସୃଷ୍ଟି ହୁଏ । ଖାଦ୍ୟରେ ଅନେକ ଧରଣର ପୋଷକ ଥାଏ । ଶ୍ୱେତସାର, ପୁଷ୍ଟିସାର, ଜୀବସାର, ଖାଦ୍ୟ ଲବଣ ଓ କ୍ୟାଲୋରିକୁ ପୋଷକ କୁହାଯାଏ । କୁପୋଷଣ ଅଧିକାଂଶ ସମୟରେ ଅପପୁଷ୍ଟିକୁ ବୁଝାଏ ଯେଉଁଥିରେ ଯଥେଷ୍ଟ କ୍ୟାଲୋରି, ପୁଷ୍ଟିସାର କିମ୍ବା ମାଇକ୍ରୋପୋଷକ ନ ଥାଏ ତଥା ଅଧିକ ପୋଷଣକୁ (overnutrition) ମଧ୍ୟ ବୁଝାଏ । ଗର୍ଭାବସ୍ଥା ଓ ଦୁଇ ବର୍ଷ ବୟସରୁ କମ ଥିବା ପିଲାଙ୍କର ଅପପୁଷ୍ଟି ହେଲେ ଶାରୀରିକ ତଥା ମାନସିକ ବୃଦ୍ଧି ହୋଇପାରେ ନାହିଁ । ଅତ୍ୟଧିକ ପୋଷକ ଅଭାବ ଯେପରିକି ଉପବାସ ଅବସ୍ଥା ହେଲେ ଉଚ୍ଚତା କମ୍ ହୁଏ, ପତଳା ଶରୀର ହୁଏ, ଶକ୍ତିସ୍ତର କମିଯାଏ ଓ ପେଟ ତଥା ଗୋଡ଼ ଫୁଲିଯାଏ । ଏଥିରେ ଲୋକର ଅଧିକ ରୋଗ ସଂକ୍ରମଣ ହୁଏ ଓ ଦେହ ଥଣ୍ଡା ରହେ । ମାଇକ୍ରୋପୋଷକ ଅଭାବ ଲକ୍ଷଣ ତାହାର ପ୍ରକାର ଅନୁସାରେ ହୁଏ । କୁପୋଷଣ ଏକ ଏପରି ଅବସ୍ଥା ଯାହା ଖାଉଥିବା ଖାଦ୍ୟରେ କେତେକ ପୋଷକର ଅଭାବ, ଆଧିକ୍ୟ, କିମ୍ବା ଅସନ୍ତୁଳିତ ଥିବା ଯୋଗୁ ଉପୁଜେ । ଏହାକୁ ଇଂରାଜୀରେ ମାଲ୍ନ୍ୟୁଟ୍ରିସନ୍ (Malnutrition) ବା ମାଲନରିସମେଣ୍ଟ (malnourishment) କହନ୍ତି । ଖାଦ୍ୟରେ ଅନେକ ଧରଣର ପୋଷକ ଥାଏ ଯଥା ଶ୍ୱେତସାର, ପୁଷ୍ଟିସାର, ଜୀବସାର, ଖାଦ୍ୟ ଲବଣ ଓ କ୍ୟାଲୋରିକୁ ପୋଷକ କୁହାଯାଏ । ଓଡ଼ିଆରେ ସାଧାରଣତଃ ଭୁଲ୍ କ୍ରମେ ଏହାକୁ ଖାଦ୍ୟାଭାବ ବୋଲି ଧରାଯାଏ । ତେଣୁ ପୋଷକର ପ୍ରାବଲ୍ୟ ବା ଅଭାବ ଭେଦରେ ବିଭିନ୍ନ ପ୍ରକାରର ପୋଷକ ରୋଗ ହୁଏ । ପୃଥିବୀର ଅଧିକାଂଶ ସ୍ଥାନରେ ଖାଦ୍ୟାଭାବ ତଥା କ୍ୟାଲୋରି ଓ ପ୍ରୋଟିନ ଅଭାବ ଜନିତ ଅପପୁଷ୍ଟି ଦେଖାଯାଏ । ସ୍ୱଳ୍ପ ବିକଷିତ ରାଷ୍ଟ୍ରମାନଙ୍କରେ ଅପପୁଷ୍ଟି ଦେଖାଯାଏ । କାରଖାନା ପ୍ରବଣ ଦେଶମାନଙ୍କରେ ମଧ୍ୟ ଏହା ଦେଖାଯାଏ । ଧନୀ ଦେଶମାନଙ୍କରେ ଅସ୍ୱାସ୍ଥ୍ୟକର ଖାଦ୍ୟ, ଅଧିକ ଶକ୍ତି ସମ୍ପର୍ଣ୍ଣ ଚର୍ବି ଓ ଶ୍ୱେତସାର ଖାଦ୍ୟ ଖାଇବା ଯୋଗୁ ହୁଏ । ପୃଥୁଳତା ଗୋଟିଏ ଜନ ସ୍ୱାସ୍ଥ୍ୟ ସମସ୍ୟା ରୂପେ ଉଭା ହେଲାଣି । ଉତ୍ତମ ମାନର ଖାଦ୍ୟ ଖାଇବାକୁ ନ ମିଳିଲେ ଅପପୁଷ୍ଟି ହୁଏ । ଖାଦ୍ୟର ଅତ୍ୟଧିକ ଦାମ୍ ଓ ଦାରିଦ୍ର୍ୟ ଯୋଗୁ ଏହା ସମ୍ଭବ ହୁଏ । ସ୍ତନ୍ୟପାନ ନ କରିବା, ଗ୍ୟାସ୍ଟ୍ରୋଏଣ୍ଟେରାଇଟିସ, ନିମୋନିଆ, ମ୍ୟାଲେରିଆ ଓ ମିଳିମିଳା ଭଳି ସଂକ୍ରାମକ ରୋଗ ହେଲେ ପୋଷଣ ଆବଶ୍ୟକତା ବଢ଼େ ଓ ଫଳତଃ ଏହି କୁପୋଷଣ କରିବାରେ ସାହାଯ୍ୟ କରନ୍ତି । ପୁଷ୍ଟିସାର-କୁପୋଷଣ ଓ ଖାଦ୍ୟାଭାବ, ଏହି ଦୁଇ ପ୍ରକାର ଅପପୁଷ୍ଟି ଦେଖାଯାଏ । ପୁଷ୍ଟିସାର କୁପୋଷଣ ଦୁଇ ଗମ୍ଭୀର ପ୍ରକାର ଥାଏ: ମାରାସ୍ମସ୍ (marasmus), ଯେଉଁଥିରେ କ୍ୟାଲୋରି ଓ ପୁଷ୍ଟିସାର ଅଭାବ ଥାଏ ଓ କ୍ୱାସିଓର୍କର (kwashiorkor) ଯେଉଁଥିରେ ପୁଷ୍ଟିସାର ଅଭାବ ଥାଏ । ସାଧାରଣ ମାଇକ୍ରୋନ୍ୟୁଟ୍ରିଏଣ୍ଟ ମଧ୍ୟରେ ଲୌହ, ଆୟୋଡିନ ଓ ଭିଟାମିନ ଏ ଅଭାବ ଅଭାବ ମୂଖ୍ୟସ୍ଥାନରେ ଥାଏ । ଗର୍ଭାବସ୍ଥାରେ ଅଧିକ ଚାହିଦା ଯୋଗୁ ପୋଷକ ନିଅଣ୍ଟ ଅଧିକ ପଡ଼େ । କେତେକ ବିକାଶଶୀଳ ଦେଶମାନଙ୍କରେ ଅପପୁଷ୍ଟି ସାଥିରେ କେତେକ ଗୋଷ୍ଠୀରେ ମୋଟାପଣ ମଧ୍ୟ ଦେଖାଯାଉଛି । କୁପୋଷଣର ଅନ୍ୟ କାରଣମାନଙ୍କ ମଧ୍ୟରେ ଆନୋରେକ୍ସିଆ ନର୍ଭୋସା (anorexia nervosa) ଓ ବାରିଆଟ୍ରିକ ଅପରେଶନ (bariatric surgery) ଅନ୍ୟତମ । ବୟସ୍କମାନଙ୍କ କ୍ଷେତ୍ରରେ ଶାରୀରିକ, ମନସ୍ତାତ୍ତ୍ୱିକ ଓ ସାମାଜିକ ପ୍ରଭାବ ଯୋଗୁ ଅଧିକ କୁପୋଷଣ ଦେଖାଯାଏ । ବିକାଶ ଯୋଜନାରେ ପୋଷକ ଉନ୍ନତି ପ୍ରଚେଷ୍ଟା ଅତି ଫଳପ୍ରଦ ବ୍ୟବସ୍ଥା ଅଟେ । ସ୍ତନ୍ୟପାନ କରାଇଲେ ଶିଶୁ କୁପୋଷଣ ଓ ମୃତ୍ୟୁ ହାର କମାଏ, ଓ ପ୍ରଚେଷ୍ଟାଦ୍ୱାରା ଉନ୍ନତି ହାର ବଢ଼େ । ୬ ମାସରୁ ୨ ବର୍ଷ ବୟସ ମଧ୍ୟରେ ସ୍ତନ୍ୟପାନ ସହ ଅନ୍ୟ ଖାଦ୍ୟ ଦେଲେ ଫଳାଫଳ ଉନ୍ନତ ହୁଏ । ବିକାଶଶୀଳ ଦେଶମାନଙ୍କରେ ଅନେକ ମାଇକ୍ରୋନ୍ୟୁଟ୍ରିଏଣ୍ଟ ଦେଇ ଖାଦ୍ୟପୂର୍ତ୍ତି (supplementation) କଲେ ଉପକାରର ପ୍ରମାଣ ମିଳୁଛି । ଅଭାବୀ ଲୋକଙ୍କୁ ଅର୍ଥ ସାହାଯ୍ୟ କରିବାଦ୍ୱାରା ସେମାନେ ସ୍ଥାନୀୟ ବଜାରରୁ ଖାଦ୍ୟ କିଣି ଖାଇବା ଫଳପ୍ରଦ ହୁଏ । କେବଳ ସ୍କୁଲରେ ଖାଦ୍ୟ ଖୁଏଇବା ଯଥେଷ୍ଟ ନୁହେଁ । ଅଧିକାଂଶ ସମୟରେ ଗମ୍ଭୀର କୁପୋଷଣ ରୋଗୀକୁ ତାଙ୍କର ନିଜ ଘରେ ପ୍ରସ୍ତୁତ-ଖାଦ୍ୟ ଦେବା ସମ୍ଭବ । ଅବସ୍ଥା ଅତି ଗମ୍ଭୀର ଥିଲେ ଡାକ୍ତରଖାନାରେ ଆଡମିଶନ ଆବଶ୍ୟକ ହୁଏ । ନିମ୍ନ ରକ୍ତ ଶର୍କରା, କମ୍ ଶରୀର ଉତ୍ତାପ, ନିର୍ଜଳନର ଚିକିତ୍ସା ସହ କ୍ରମାନ୍ୱୟ ଖାଦ୍ୟ ଦେବା ବ୍ୟବସ୍ଥା କରାଯାଏ । ସଂକ୍ରମଣ ସମ୍ଭାବନା ଥିବାରୁ ନିୟମିତ ଆଣ୍ଟିବାୟୋଟିକ୍ ଦେବାକୁ ପରାମର୍ଶ ଦିଆଯାଏ । ଦୀର୍ଘକାଳୀନ ବ୍ୟବସ୍ଥାରେ କୃଷି ବ୍ୟବସ୍ଥା ଆବଶ୍ୟକ, ଯାହାଦ୍ୱାରା ଦାରିଦ୍ର୍ୟ ଦୂରୀକରଣ, ଉନ୍ନତ ପରିମଳ ବ୍ୟବସ୍ଥା ଓ ମହିଳା ସଶକ୍ତିକରଣ ହୋଇପାରିବ । ସନ ୨୦୧୦ ସୁଦ୍ଧା ପୃଥିବୀରେ ୯୨୫ ନିୟୁତ ଅପପୁଷ୍ଟି ରୋଗୀ ଥିଲେ ଯାହା ୧୯୯୦ ସନ ଅପେକ୍ଷା ୮୦ ନିୟୁତ ଅଧିକ ଥିଲା । ଆଉ ଏକ ବିଲିଅନ ଲୋକ ଭିଟାମିନ ଓ ଖାଦ୍ୟ ଲବଣ ଅଭାବରେ ପୀଡ଼ିତ ଅଛନ୍ତି । ସନ ୨୦୧୦ରେ ପୁଷ୍ଟିସାର-ଶକ୍ତି କୁପୋଷଣ ମୃତ୍ୟୁ ସଂଖ୍ୟା ୬୦୦,୦୦୦ ଥିଲା ଯାହା ସନ ୧୯୯୦ର ଉଲ୍ଲିଖିତ ସଂଖ୍ୟା ଥିଲା ୮୮୩,୦୦୦ । ଅନ୍ୟାନ୍ୟ ପୋଷକ ଅଭାବ ନାମ ଆୟୋଡିନ ଅଭାବ, ଲୌହାଭାବ ଆନିମିଆ ଯୋଗୁ ୮୪,୦୦୦ ମୃତ୍ୟୁ ହୋଇଥିଲା । ଅନୁପୋଷଣ (undernutrition) ଯୋଗୁ ସନ ୨୦୧୦ରେ ୧.୪% ବିକଳାଙ୍ଗ ନିୟନ୍ତ୍ରିତ ଜୀବନବର୍ଷ (disability adjusted life years) ଥିଲା । ପିଲାଙ୍କ ମୃତ୍ୟୁ ସଂଖ୍ୟାର ପ୍ରାୟ ଏକ ତୃତୀୟାଂଶ ଅନୁପୋଷଣ ଯୋଗୁ ହେବା ବିଶ୍ୱାସ କରାଯାଥିଲା କିନ୍ତୁ ସମସ୍ତ ରୋଗୀଙ୍କୁ ଏହି ଦଳରେ ନିଆଯାଇ ନ ଥିଲା । ସନ ୨୦୧୦ର ହିସାବ ଅନୁସାରେ ଏହି ରୋଗ ଯୋଗୁ ମହିଳା ଓ ପିଲାଙ୍କ ମୃତ୍ୟୁ ୧.୫ ନିୟୁତ ଥିଲା, ଯଦିଓ କେତେକ ହିସାବ ଅନୁସାରେ ଏହା ୩ ନିୟୁତରୁ ଅଧିକ ହେବା ସମ୍ଭାବନା ଅଛି । ଏହି ରୋଗ ଯୋଗୁ ଅଧିକ ୧୬୫ ନିୟୁତ ପିଲାଙ୍କର ବାମନ-ବିକାଶ ଥିଲା । ବିକାଶଶୀଳ ଦେଶମାନଙ୍କରେ ଅନୁପୋଷଣ ସାଧାରଣତଃ ଦେଖାଯାଏ । ଡବ୍ଲ୍ୟୁ.ଏଚ୍.ଓ.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୌରହରି ଦାସ (ଜନ୍ମ: ୯ ଅକ୍ଟୋବର ୧୯୬୦) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ସ୍ତମ୍ଭକାର । ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି । ସଂପ୍ରତି ସେ ଓଡ଼ିଆ ଖବରକାଗଜ ସମ୍ବାଦର ସାହିତ୍ୟ ସମ୍ପାଦକ ଏବଂ କଥା ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରନ୍ତି । ସେ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଆ ଆଣ୍ଡ କଲ୍ଚର" ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ । ପୂର୍ବରୁ ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଥିଲେ । ତାଙ୍କର ସାହିତ୍ୟ ରଚନା ନିମନ୍ତେ ଅନ୍ୟାନ୍ୟ ପୁରସ୍କାର ଓ ସମ୍ମାନ ସମେତ ସେ ସେ ୨୦୧୨ ମସିହାରେ "କଣ୍ଟା ଓ ଅନ୍ୟାନ ଗଳ୍ପ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଏବଂ ୨୦୦୧ରେ "ନିଜ ସାଙ୍ଗେ ନିଜର ଲଢ଼େଇ" ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ତାଙ୍କର "ବାଘ ଓ ଅନ୍ୟାନ୍ୟ ଗଳ୍ପ" ଗଳ୍ପସଂକଳନ ନିମନ୍ତ ସେ ୨୦୨୨ ମସିହାରେ ଶାରଳା ପୁରସ୍କାର ପାଇଁ ମନୋନୀତ ହୋଇଥିଲେ ।
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.