ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାର୍ତ୍ତିକ କୁମାର ଘୋଷ (୨୩ ଅକ୍ଟୋବର ୧୯୦୩ – ୧୯ ମଇ, ୧୯୯୭) ଏକଧାରରେ ଅଭିନେତା, ନାଟ୍ୟକାର, ଗୀତିକାର, ଗାୟକ ଓ ନର୍ତ୍ତକ ଥିଲେ | ସେ ୧୯୦୩ ମସିହା ଅକ୍ଟୋବର ୨୩ତାରିଖ ଦିନ କଟକର ବାଖରାବାଦରେ ଜନ୍ମଗ୍ରହଣ କରିଥିଲେ ।କାହାଣୀକାର ଓ ଗୀତିକାର ଅଶ୍ୱିନୀ କୁମାର ଘୋଷ କାର୍ତ୍ତିକ କୁମାରଙ୍କ ବଡ଼ ଭାଇ ଥିଲେ । ଶ୍ରୀ ଲୋକନାଥ କଥାଚିତ୍ରର 'ଆଜି ଆକାଶେ କି ରଙ୍ଗ ଲାଗିଲା' ଗୀତଟି ସେ ରଚନା କରିଥିଲେ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାଳିଜାଇ ମନ୍ଦିର ଓଡ଼ିଶାର ଚିଲିକା ହ୍ରଦର ଏକ ଛୋଟ ଦ୍ୱୀପ ମଧ୍ୟରେ ଅବସ୍ଥିତ। ନୀଳ ଜଳର ଚଦରରେ ଆବୃତ ହୋଇ ଥିବା ଏହି ପବିତ୍ର ସ୍ଥାନ ଓଡ଼ିଶା ପର୍ଯ୍ୟଟନର ଏକ ଐତିହାସିକ କିମ୍ବଦନ୍ତୀ ଭାବେ ଜଣାଶୁଣା। ପ୍ରାୟ ୨୯ ଏକର ପାହାଡରେ ପରିପୂର୍ଣ୍ଣ ଏ ଦ୍ୱୀପରେ ମା’ କାଳିଜାଇ ପୂଜା ପାଉଛନ୍ତି । କାଳିଜାଇ ଚିଲିକାର ଏକ ସ୍ୱତନ୍ତ୍ର ଆକର୍ଷଣ । ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଏଠାକୁ ମା’ଙ୍କ ଦର୍ଶନ ପାଇଁ ଆସିଥନ୍ତି । ମକର ସଂକ୍ରାନ୍ତିରେ କାଳିଜାଇ ପୀଠରେ ପ୍ରସିଦ୍ଧ ମକରମେଳା ଅନୁଷ୍ଠିତ ହୁଏ । ଜାନୁଆରୀ ମାସରେ ପଡୁଥିବା ମକରମେଳା ଏଠାକାର ଏକମାତ୍ର ଲୋକପ୍ରିୟ ପର୍ବ । ଏହି ପର୍ବରେ ଆଖପାଖ ଅଞ୍ଛଳର ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।
ଜ୍ୟେଷ୍ଠମାସ କୃଷ୍ଣପକ୍ଷ ଏକାଦଶୀ ଦିନଟିକୁ ଅପରା ଏକାଦଶୀ ଭାବେ ପାଳନ କରାଯାଏ । କାରଣ ଏହି ଏକାଦଶୀ ବ୍ରତ ପାଳନ ଫଳରେ ବ୍ରତୀ ଅପାର ସଂସାର ସମୂହକୁ ସହଜରେ ପାରି ହୋଇଥାଏ । ଯେତେ ଯେତେ ମହାପାପ ଯଥା କ୍ଷତ୍ରୀୟମାନେ ଯୁଦ୍ଧକ୍ଷେତ୍ରରୁ ପୃଷ୍ଠଭଙ୍ଗ ଦେବା, ମାତା, ପିତା ତଥା ଗୁରୁଜନଙ୍କ ନିନ୍ଦା କରିବା, ବ୍ରହ୍ମହତ୍ୟା କରିବା, ଗୋହତ୍ୟା କରିବା, ପରସ୍ତ୍ରୀକୁ ହରଣ କରିବା, ମିଥ୍ୟା କହିବା ମିଥ୍ୟା ବେଦ ପଢ଼ିବା, ମିଥ୍ୟା ଶାସ୍ତ୍ର ଲେଖିବା ଏବଂ ମିଥ୍ୟା ବିଦ୍ୟା ଇତ୍ୟାଦି ଅଭ୍ୟାସ କରିବା ଜନିତ ଯେତେ ଅପରାଧ ଓ ପାପ ଯେଉଁଥିରେ ନର୍କଦଶା ହେବା କଥା, ଏହି ଏକାଦଶୀ ପାଳନରେ ତାହା ନାଶ ହୋଇ ବ୍ରତୀକୁ ବୈକୁଣ୍ଠାସନ ମିଳେ । ପୁନଶ୍ଚ କୁହାଯାଇଛି ଯେ ଏହି ଏକାଦଶୀ ପାଳନ ଫଳରେ ତିନି ପୁଷ୍କର ସ୍ନାନ, କାର୍ତ୍ତିକ ସ୍ନାନ ଏବଂ ଗଙ୍ଗା ସ୍ନାନ ଇତ୍ୟାଦିର ପୁଣ୍ୟଫଳ ମିଳିଥାଏ । ସିଂହରାଶିର ଲୋକେ ଗୁରୁବାର ଦିନ ଗୋମତୀରେ ସ୍ନାନ କରିବା, କୁମ୍ଭରାଶିର ଲୋକେ କେଦାରନାଥଙ୍କୁ ଦର୍ଶନ କରିବା ଏବଂ ବଦ୍ରିକା ଆଶ୍ରମରେ ବାସ କରିବା ଫଳରେ ଯେଉଁଫଳ ମିଳେ ଅଥବା ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ସମୟରେ କୁରୁକ୍ଷେତ୍ରରେ ସ୍ନାନକଲେ ଯେଉଁ ପୁଣ୍ୟଫଳ ମିଳେ, ତାହା କେବଳ ଏହି ଏକାଦଶୀ ବ୍ରତ ପାଳନ ଫଳରେ ମିଳିଥାଏ ।ଏକଥା ମଧ୍ୟ କୁହାଯାଇଛି ଯେ ହାତୀ, ଘୋଡ଼ା ତଥା ଯଜ୍ଞରେ ସ୍ୱର୍ଣ୍ଣଦାନ କଲେ ଯେଉଁ ଫଳ ମିଳେ, ତାହାମଧ୍ୟ ଏହି ଏକାଦଶୀ ପାଳନରେ ମିଳିଥାଏ । ଏହି ଏକାଦଶୀ ପାଳନ ଫଳରେ ଭୂମି, ସ୍ୱର୍ଣ୍ଣ, ଗୋ ବା କନ୍ୟାଦାନ ପୁଣ୍ୟର ଆବଶ୍ୟକତା ନଥାଏ । ପାପରୂପୀ ବୃକ୍ଷ ଛେଦନ ପାଇଁ ଏହା ଏକ କୁରାଢ଼ି ସ୍ୱରୂପ ଅଥବା ସିଂହକୁ ଦେଖି ମୃଗ ପଳାଇବା ପରି, ଏହି ଏକାଦଶୀ ଯିଏ ପାଳନ କରେ ତାକୁ ପାପ ସ୍ପର୍ଶ କରେନାହିଁ ଅର୍ଥାତ୍ ତାଠାରୁ ଦୂରେଇ ଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଫଣୀଶ୍ୱର ନାଥ 'ରେଣୁ' (୪ ମାର୍ଚ୍ଚ ୧୯୨୧ - ୧୧ ଅପ୍ରେଲ ୧୯୭୭) ପ୍ରେମଚାନ୍ଦ ପରବର୍ତ୍ତୀ ଆଧୁନିକ ହିନ୍ଦୀ ସାହିତ୍ୟର ଅନ୍ୟତମ ସଫଳ ତଥା ପ୍ରଭାବଶାଳୀ ଲେଖକ ଥିଲେ। ତାଙ୍କ ରଚିତ ମୈଲା ଆଞ୍ଚଲ, ପ୍ରେମଚାନ୍ଦଙ୍କ ଗୋଦାନପରେ, ଅନ୍ୟତମ ଉଲ୍ଲେଖନୀୟ ହିନ୍ଦୀ ଉପନ୍ୟାସ ଭାବରେ ବିବେଚନା କରାଯାଏ। ଫଣୀଶ୍ୱର ନାଥ (ମଣ୍ଡଳ) ରେଣୁ ୪ ମାର୍ଚ୍ଚ ୧୯୨୧ରେ ବିହାରର ସିମ୍ରାହା ରେଳ ଷ୍ଟେସନ ନିକଟ ଏକ ଛୋଟ ଗାଁ ଅରୁହି ହିଙ୍ଗାଣାରେ ଜନ୍ମଗ୍ରହଣ କରିଥିଲେ । ମଣ୍ଡଳ(ଉପନାମ)ର ଏହି ସମ୍ପ୍ରଦାୟ ଯେଉଁଥିରେ ରେଣୁ ସମ୍ପୃକ୍ତ ଥିଲେ, ଭାରତର ଏକ ପଛୁଆ ସାମାଜିକ ଗୋଷ୍ଠୀ ଭାବରେ ପରିଚିତ । ରେଣୁଙ୍କ ପରିବାର କିନ୍ତୁ ଜମି, ଶିକ୍ଷା ଏବଂ ସାମାଜିକ ସମ୍ମାନର ଅଧିକାରୀ ଥିଲେ । ରେଣୁଙ୍କ ପିତା ଶିଳାନାଥ ମଣ୍ଡଳ ଭାରତୀୟ ଜାତୀୟ ଆନ୍ଦୋଳନରେ ସକ୍ରିୟ ଥିଲେ ଏବଂ ଆଧୁନିକ ଚିନ୍ତାଧାରା, ସଂସ୍କୃତି ଏବଂ କଳା ପ୍ରତି ତାଙ୍କର ଆଗ୍ରହ ଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଛ ମାଣ ଆଠ ଗୁଣ୍ଠ ୧୮୯୭ ମସିହାରେ ଫକୀର ମୋହନ ସେନାପତିଙ୍କ ରଚିତ ଏକ ଓଡ଼ିଆ ଉପନ୍ୟାସ । ଏହା ପ୍ରଥମେ ଏକ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା । ଫକୀର ମୋହନ ଏହାକୁ "ଧୂର୍ଜଟୀ" ଛଦ୍ମନାମରେ ପ୍ରକାଶ କରାଇଥିଲେ । ସେତେବେଳର ଓଡ଼ିଶାର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା । ୧୯୮୬ରେ ପାର୍ବତୀ ଘୋଷ ଏହି ଉପନ୍ୟାସକୁ ଆଧାର କରି ସମାନ ନାମରେ ଏକ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
କଳାପାହାଡ଼ ନାମରେ ବଙ୍ଗଳାର ମୋଗଲ ଶାସକ ସୁଲତାନ ସୁଲେମାନ କିର୍ରାନିଙ୍କର (Sulaiman Karrani) ଜଣେ ସେନାପତିଙ୍କୁ ଡକାଯାଉଥିଲା । କେତେକ ଐତିହାସିକ ତଥ୍ୟରୁ ଜଣାଯାଏ, ସେ କଳିଙ୍ଗ-ଉତ୍କଳର ଶେଷ ସମ୍ରାଟ ମୁକୁନ୍ଦଦେବଙ୍କର ହିନ୍ଦୁ (ଓଡ଼ିଆ)ସେନାପତି ଥିଲେ, ଜାତିରେ କାୟସ୍ଥ ଥିଲେ ଓ ତାଙ୍କର ନାମ ରାଜିବ ଲୋଚନ ରାୟ ଥିଲା । ଧର୍ମ ପରିବର୍ତ୍ତନ କରି ସେ ମୁସଲମାନ ହେଲେ। ସେଖ୍ କବିର ବାତିନିଙ୍କର ମତରେ କଳାପାହାଡ଼ ଆଫଗାନ ଲୋକ ଥିଲେ । ଲୋକମୁଖରେ ସେ କଳାପାହାଡ଼ ନାମରେ ପରିଚିତ ଥିଲେ । ଓଡ଼ିଶାର କେତେକ ସ୍ଥାନ ସେ ବଙ୍ଗଳାର ଆଫଗାନ ଶାସକଙ୍କ ନିମନ୍ତେ ଦଖଲ କରିଥିଲେ ।କଳା ପାହାଡ ବହୁତ ନିଷ୍ଠୁର ଥିଲେ ସେ ଆକବରଙ୍କ ବାପାଙ୍କ ମାଉସୀ ପୁଅର ପୁଅ ଥିଲେ
ସାନ୍ତାଳ ଜନଜାତି ଭାରତୀୟ ଉପମହାଦେଶର ଏକ ଅଷ୍ଟ୍ରୋଏସୀୟ ଭାଷାଭାଷୀ ମୁଣ୍ଡା ଜାତିଗୋଷ୍ଠୀ । ଜନସଂଖ୍ୟା ଦୃଷ୍ଟିରୁ ଭାରତୀୟ ରାଜ୍ୟ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗରେ ସାନ୍ତାଳ ବୃହତ୍ତମ ଜନଜାତି ସାନ୍ତାଳମାନେ ଓଡ଼ିଶା, ବିହାର ଓ ଆସାମରେ ମଧ୍ୟ ବସବାସ କରିଥାନ୍ତି । ସାନ୍ତାଳମାନେ ଉତ୍ତର ବଙ୍ଗଳାଦେଶର ରାଜସାହି ଡିଭିଜନ ଏବଂ ରଙ୍ଗପୁର ଡିଭିଜନର ସର୍ବବୃହତ ସଂଖ୍ୟାଲଘୁ ଓ ନେପାଳରେ ଅନେକ ସାନ୍ତାଳ ବସବାସ କରନ୍ତି । ସାନ୍ତାଳମାନେ ଅଷ୍ଟ୍ରୋ-ଏସିଆଟିକ୍ ଭାଷା ପରିବାରର ସର୍ବାଧିକ କଥିତ ମୁଣ୍ଡା ଭାଷା ସାନ୍ତାଳୀ କୁହନ୍ତି ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଗୋଲକ ବିହାରୀ ନାଏକ (ଜନ୍ମ: ୨୭ ଅଗଷ୍ଟ ୧୯୫୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ଶ୍ରୀନାଥ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି ଏବଂ ପୂର୍ବରୁ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୨୦୦୦, ୨୦୦୪ ଓ ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଖୁଣ୍ଟା ଓ ଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମୋହନ ଚରଣ ମାଝୀ ([mohɔnɔ t͡ʃɔɾɔɳɔ mad͡ʒʱi] (); ଜନ୍ମ: ୬ ଜାନୁଆରୀ ୧୯୭୨) ଜଣେ ଭାରତୀୟ ରାଜନେତା ଏବଂ ଓଡ଼ିଶାର ୧୫ଶ ତଥା ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଅଟନ୍ତି । ସେ ଭାରତୀୟ ଜନତା ପାର୍ଟିରୁ ଜଣେ ବିଧାୟକ ଭାବରେ ୨୦୦୦, ୨୦୦୯ ଓ ୨୦୧୯ ଓ ୨୦୨୪ ମସିହାରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓ ୧୬ଶ ଓ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଗଜଲ୍ ଆରବୀ ସାହିତ୍ୟର ଏକ ପ୍ରସିଦ୍ଧ କାବ୍ୟକଳା । ପରେ ପରେ ଏହା ପାର୍ସୀ, ଉର୍ଦ୍ଦୁ ଏବଂ ହିନ୍ଦୀ ସାହିତ୍ୟରେ ଖୁବ୍ ଲୋକପ୍ରିୟ ହୋଇଛି । ଆରବୀ ଭାଷାରେ ‘ଗଜଲ’ର ଅର୍ଥ ହେଉଛି ନାରୀ ବା ନାରୀ ସମ୍ବନ୍ଧିତ କଥା । ସାହିତ୍ୟର ଅନ୍ୟାନ୍ୟ ବିଭାଗ ପରି ଏହାର କିଛି ସ୍ୱତନ୍ତ୍ର ବ୍ୟାକରଣ ରହିଛି । ଗଜଲ ହେଉଛି ଏକ କାବ୍ୟାତ୍ମକ ଅନ୍ତ୍ୟାନୁପ୍ରାସ ଯୁକ୍ତ ସାୟରି । କ୍ୱାସିଦା, କାଫିୟା, ସେର୍, ରାଦିଫ୍, ମଖ୍ତା, ତଖାଲୁସ୍, ବେହେର୍ ପରି ଗଜଲ ସହ ସମ୍ବନ୍ଧିତ ଅନେକ ଶବ୍ଦ ରହିଛି, ଯାହାକି ଗଜଲର ବ୍ୟାକରଣ ତଥା ଶୈଳୀକୁ ସମୃଦ୍ଧ କରିଛି । ସେହିପରି ଗଜଲର ଶବ୍ଦରେ ରାଜକୀୟତା ସହ କୋମଳତା ବି ଭରି ରହିଛି । ଦର୍ଦ, ବର୍ପା, ହଙ୍ଗାମା, ଆୱାଜ୍, ଆୱାରି, ନଶା, ଚାନ୍ଦ୍, ଜମିନ୍, ଇସ୍କ୍, ଆଇନା, ହୋଠୋଁ, ତସ୍ବିର୍, ଜମାନା, ଆଁଶୁ, ଆସିକ୍ ପରି ଅନେକ ଶବ୍ଦର ବାରମ୍ବାର ପ୍ରୟୋଗ ହୋଇ ଆସୁଛି । କିନ୍ତୁ ଗଜଲ ଶବ୍ଦରେ ନୁହେଁ, ହୃଦୟରେ ଗଢ଼ା । ଶବ୍ଦ ସହ ବିଶେଷ ପରିଚିତ ନ ଥିବା ଶ୍ରୋତାଟିଏ ଏହାକୁ କେବଳ ‘ପ୍ରେମ’ର ଭାଷାରେ ହିଁ ବୁଝିପାରିବ । ଅନ୍ୟ ଅର୍ଥରେ କହିଲେ, ପ୍ରେମ ସମ୍ବନ୍ଧିୟ ଅନୁଭୂତି, ଆବେଗ ତଥା ଆକର୍ଷଣ ଗଜଲର ଶ୍ରୋତାଙ୍କୁ ବାନ୍ଧି ରଖିଥାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଜୟନ୍ତ ମହାପାତ୍ର (୨୨ ଅକ୍ଟୋବର ୧୯୨୮ – ୨୭ ଅଗଷ୍ଟ ୨୦୨୩) ଓଡ଼ିଶାରେ ଜନ୍ମିତ ଜଣେ କବି ଥିଲେ । ସେ ଉଭୟ ଓଡ଼ିଆ ଏବଂ ଇଂରାଜୀରେ କବିତା ଲେଖୁଥିଲେ । ଇଂରାଜୀ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ କବି । ଆଧୁନିକ ଭାରତୀୟ ଇଂରାଜୀ ସାହିତ୍ୟରେ କ୍ଲାସିକ ଭାବରେ ବିବେଚନା କରାଯାଉଥିବା ଇଣ୍ଡିଆନ ସମର ଏବଂ ହଙ୍ଗର ଆଦି କବିତାର ସେ କବି । ୨୦୦୯ ମସିହାରେ ତାଙ୍କୁ ଭାରତର ଚତୁର୍ଥ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଥିଲା । ଭାରତରେ ବଢୁଥିବା ଅସହିଷ୍ଣୁତା ବିରୋଧରେ ପ୍ରତିବାଦ କରିବା ପାଇଁ ସେ ୨୦୧୫ରେ ଏହି ପୁରସ୍କାର ଫେରାଇ ଦେଇଥିଲେ । ତାଙ୍କର ମୋଟ ୨୭ଟି ଇଂରାଜୀ ଓ ୯ଟି ଓଡ଼ିଆ କବିତା ସଙ୍କଳନ ସହ ଏକ ଗପ ବହି ଏବଂ ଆତ୍ମଜୀବନୀ ପାହିନି ରାତି ପ୍ରକାଶିତ ହୋଇଛି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଚିତାବାଘ (ଇଂରାଜୀରେ The Cheetah ଓ ଜୀବ ବିଜ୍ଞାନ ନାମ Acinonyx jubatus) ଏକ ବିଲେଇ ଜାତୀୟ ମାଂସଭୋଜୀ ଜୀବ । ବର୍ତ୍ତମାନ ସମୟରେ ଏହି ଜୀବ ମୁଖ୍ୟତଃ ପୂର୍ବ ଆଫ୍ରିକା, ଦକ୍ଷିଣ ଆଫ୍ରିକା ଓ ଇରାନର କେତେକ ସ୍ଥାନରେ ଦେଖାଯାଏ । ଏକିନୋନିକ୍ସ୍ ପ୍ରଜାତିର ଚିତାବାଘର ପ୍ରଥମ ବର୍ଣ୍ଣନା ୧୭୭୫ ମସିହାରେ ଜୋହାନ୍ ଡାନିଏଲ୍ ଭୋନ୍ ସ୍କ୍ରେବର୍ (Johann Christian Daniel von Schreber)ଙ୍କ ଲେଖାରେ ମିଳେ । ଚିତାବାଘର ଶରୀର ପତଳା, ମୁଣ୍ଡ ଛୋଟ, ଶରୀର ଚିତାଦାଗରେ ପୂର୍ଣ୍ଣ, ଗୋଡ଼ଗୁଡ଼ିକ ପତଳା ଓ ଲମ୍ବା ଓ ଲାଞ୍ଜ ଲମ୍ବା । ଏହାର ନାକ ଓ ଆଖି ମଝିରେ ଲୁହ ଗଡ଼ିଲା ପରି ଏକ କଳାଚିହ୍ନ ଥାଏ । ଶରୀର ଗଠନ ଦୃଷ୍ଟିରୁ ଚିତାବାଘ ପତଳା ଓ ହାଲୁକା ଯାହା ବିଲେଇ ପ୍ରଜାତିର ଅନ୍ୟ ଜୀବ ଯଥା ମହାବଳ ବାଘ, ସିଂହ, କଲରାପତରିଆ ବାଘ ଇତ୍ୟାଦିଙ୍କ ଶରୀର ଗଠନର ସମ୍ପୂର୍ଣ୍ଣ୍ଣ ବିପରୀତ । ବରଂ କୁଗାର୍ ପ୍ରଜାତିର ଜୀବଙ୍କ ସହ ଏହାର ଅଧିକ ସାମଞ୍ଜସ୍ୟ ରହିଛି । ଭୂମିରୁ ଚିତାବାଘର କାନ୍ଧର ଉଚ୍ଚତା ପ୍ରାୟ ୭୦-୯୦ ସେଣ୍ଟିମିଟର୍ ହୋଇଥିବା ବେଳେ ଏମାନଙ୍କ ଓଜନ ପ୍ରାୟ ୨୧-୭୨ କିଲୋଗ୍ରାମ୍ ମଧ୍ୟରେ ରହିଥାଏ । ଏମାନେ କଲରାପତରିଆ ବାଘଠାରୁ ସାମାନ୍ୟ ଉଚ୍ଚ ହୋଇଥିବା ବେଳେ ସିଂହମାନଙ୍କ ତୁଳନାରେ ଖୁବ୍ ଛୋଟ । ଏମାନଙ୍କ ହଳଦିଆ ବା ଧୁସରିଆ ରଙ୍ଗର ଚମଡ଼ା ପ୍ରାୟ ୨୦୦୦ ଚିତା ଚିତା ଦାଗରେ ସଜାଇ ହୋଇଥାଏ । ଚିତାବାଘ ମୁଖ୍ୟତଃ ଏକ ଦିବାଚର ପ୍ରାଣୀ ଓ ଏମାନେ ଦିନବେଳେ ଶିକାର କରନ୍ତି । ପ୍ରାପ୍ତବୟସ୍କ ଅଣ୍ଡିରା ଚିତାବାଘ ଶିକାର ପାଇଁ କ୍ଷେତ୍ର ନିୟନ୍ତ୍ରଣ କରନ୍ତି, କିନ୍ତୁ ଏମାନଙ୍କଠାରେ ସାମାଜିକ (ମିଳିମିଶି ଦଳରେ ରହିବା) ମନୋଭାବ ମଧ୍ୟ ଦେଖାଯାଇଥାଏ । କେତେକ ସମୟରେ ଚିତାବାଘ ଭାଈମାନଙ୍କ ଗୋଷ୍ଠୀ ମିଳିମିଶି ରହିବା ଓ ଶିକାର କରିବା ଦେଖାଯାଏ । ମାଈ ଚିତାବାଘମାନଙ୍କଠାରେ ଶିକାର କ୍ଷେତ୍ର ନିୟନ୍ତ୍ରଣ ପ୍ରବୃତ୍ତି ଦେଖାଯାଏ ନାହିଁ । ମାଈମାନେ ଏକାକୀ କିମ୍ବା ନିଜ ପରିବାର ସହିତ ରହନ୍ତି । ଚିତାବାଘ ମାଂସଭୋଜୀ ପ୍ରାଣୀ ଓ ସାଧାରଣତଃ ଆଣ୍ଟିଲୋପ୍ ହରିଣ (କୁଟୁରା ଭଳି ଜୀବ) ବା ଥୋମସନ୍ ଗ୍ୟାଜେଲ୍ ହରିଣଙ୍କ ଶିକାର କରନ୍ତି । ଚିତାବାଘ ଶିକାରର ଅଜାଣତରେ ତାହାର ୧୦୦ରୁ ୩୦୦ ମିଟର୍ ଦୂରତା ପର୍ଯ୍ୟନ୍ତ ଛପି ଛପି ତା’ର ଅନୁସରଣ କରେ ଓ ତାହାପରେ ଶିକାରକୁ ଗୋଡ଼ାଇ ଧରିବାକୁ ଚେଷ୍ଟା କରେ । ଦୌଡ଼ୁଥିବା ଅବସ୍ଥାରେ ଶିକାରକୁ ପକାଇ ଦେଇ ଓ ତାହାର ଶ୍ୱାସରୁଦ୍ଧ କରି ହତ୍ୟା କରେ । ଚିତାବାଘର ଦ୍ରୁତ ବେଗର କାରଣ ହେଉଛି ତାହାର ଶରୀର ଗଠନ । ସ୍ଥଳଚର ପ୍ରାଣୀଙ୍କ ମଧ୍ୟରେ ଚିତାବାଘ ଦ୍ରୁତତମ । ଶିକାର କରୁଥିବା ଅବସ୍ଥାରେ ଚିତାବାଘର ହାରାହାରି ବେଗ ପ୍ରାୟ ୬୪ କି.ମି. ପ୍ରତି ଘଣ୍ଟା ହୋଇଥାଏ । ଶିକାରକୁ ଗୋଡ଼ାଇବା ବେଳେ ଚିତାବାଘ ଖୁବ୍ କମ୍ ସମୟପାଇଁ ପ୍ରାୟ ୧୧୨ କି.ମି.
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା (ସି.ଏଚ୍.ଏସ୍.ଇ.(ଓ) ଭାବେ ସଂକ୍ଷିପ୍ତରେ ଲିଖିତ) ଭାରତରେ ଓଡ଼ିଶା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସରକାରୀ ଏବଂ ଘରୋଇ ବିଦ୍ୟାଳୟ ଓ କଲେଜ ପାଇଁ ଉଚ୍ଚ ମାଧ୍ୟମିକ (ଏକାଦଶ ଓ ଦ୍ଵାଦଶ ଶ୍ରେଣୀ ପାଠ୍ୟକ୍ରମ) ପ୍ରଦାନ କରୁଥିବା ଏକ ଶିକ୍ଷା ବୋର୍ଡ । ଏହା ଭୁବନେଶ୍ୱରଠାରେ ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।