ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ଼ ରାଜନୈତିକ ଦଳ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
ମମତା ମହନ୍ତ ଜଣେ ଭାରତୀୟ ରାଜନୀତିଜ୍ଞା । ସେ ବିଜୁ ଜନତା ଦଳର ସଦସ୍ୟ ଭାବରେ ଭାରତୀୟ ସଂସଦର ଉପର ସଦନରେ ରାଜ୍ୟ ସଭାର ସାଂସଦ ଭାବରେ ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିଲେ । ୩୧ ଜୁଲାଇ ୨୦୨୪ରେ, ସେ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ । ୨୦୨୦ ମସିହାରେ ଓଡ଼ିଶାରେ ୪ ଗୋଟି ରାଜ୍ୟ ସଭା ଆସନ ପାଇଁ ହୋଇଥିବା ନିର୍ବାଚନରେ ସେ ଚାରିଜଣ ପ୍ରାର୍ଥୀଙ୍କ ମଧ୍ୟରୁ ରଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଦିଗମ୍ବର ଜୈନ ମନ୍ଦିର ଓଡ଼ିଶାର ଖଣ୍ଡଗିରିଠାରେ ଥିବା ଏକ ଜୈନ ମନ୍ଦିର । ଏହି ଖଣ୍ଡଗିରି ପାହାଡ଼ର ପ୍ରସ୍ତରରେ ଖୋଦିତ ଅନେକ ଜୈନ ଗୁମ୍ଫା ରହିଛି । ଏହା ପ୍ରଥମ ଶତାବ୍ଦୀରେ ଖାରବେଳଙ୍କଦ୍ୱାରା ନିର୍ମିତ ହେଇଥିଲା । ବର୍ତ୍ତମାନ ଏହି ଗୁମ୍ଫାଗୁଡ଼ିକ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗଦ୍ୱାରା ସଂରକ୍ଷିତ । ଏଠାରେ ଜୈନ ତୀର୍ଥଙ୍କରଙ୍କ ପ୍ରତିମୂର୍ତ୍ତି ରହିଛି । ଏହି ମନ୍ଦିର ବଙ୍ଗାଳ, ବିହାର ଓ ଓଡ଼ିଶାର ଦିଗମ୍ବର ଜୈନ ତୀର୍ଥଙ୍କର କମିଟି ତରଫରୁ ବିମଳା ଦେବୀଙ୍କଦ୍ୱାରା ପରିଚାଳିତ ହୁଏ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଦେବାଶିଷ ନାୟକ (ଜନ୍ମ: ୨୦ ଜୁନ ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଦେବାଶିଷ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୪ଥର କାର୍ଯ୍ୟ କରିଛନ୍ତି । ୨୦୦୦ ଓ ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବରୀ-ଡେରାବିଶ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ୨୦୦୯ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ମୁଣ୍ଡା ଭାଷାସମୂହ (ଇଂରାଜୀ: Munda languages) ମଧ୍ୟ ଏବଂ ପୂର୍ବ ଭାରତ ତଥା ବଙ୍ଗଳାଦେଶରେ ନଅ ମିଲିଅନ ଲୋକଙ୍କ ଦେଇ କଥିତ ଏକ ଭାଷା ପରିବାର । ସେମାନେ ଅଷ୍ଟ୍ରୋଏସୀୟ ଭାଷାସମୂହର ଖମେର ଭାଷା (କାମ୍ବୋଡ଼ିଆ) ଦୂର ସମ୍ବନ୍ଧିତ, ଅନ୍ୟାନ୍ୟ ଭିଏତନାମୀ ଭାଷା ସହ କିଛି ପରିମାଣରେ ସମ୍ବନ୍ଧିତ, ଓ ଥାଇଲାଣ୍ଡ, ଲାଓସ ଏବଂ ଦକ୍ଷିଣ ଚୀନର କିଛି ଅଳ୍ପ କଥିତ ଭାଷା ସହ ଏକ ଶାଖା । ମୁଣ୍ଡା ଭାଷାର ଆରମ୍ବ ଅଜଣା । ତେବେ ପୂର୍ବ ଭାରତର ଅନ୍ୟାନ୍ୟ ଭାଷା ସହ ଏହା ସମ୍ବନ୍ଧିତ । ହୋ, ଭୂମିଜ, ମୁଣ୍ଡାରୀଏବଂ ସାନ୍ତାଳୀ ଏହି ପରିବାରର ମୁଖ୍ୟ ଭାଷା ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ପ୍ରଫୁଲ୍ଲ ଚନ୍ଦ୍ର ମହାପାତ୍ର ଜଣେ ଭାରତୀୟ ପ୍ରାଧ୍ୟାପକ ଓ ଲେଖକ । ସେ ଓଡ଼ିଶାର କୋରାପୁଟସ୍ଥିତ ବିଶ୍ଳେଷଣାତ୍ମକ ଆଦିବାସୀ ଗବେଷଣା ପରିଷଦର ମୁଖ୍ୟ ଓ ଏଠାରୁ ପ୍ରକାଶିତ ଟ୍ରାଇବାଲ ଷ୍ଟଡିଜ ଜର୍ଣ୍ଣାଲର ସମ୍ପାଦକ । ତାଙ୍କର ଗବେଷଣା ଓ ଅଧ୍ୟାପନା ମୁଖ୍ୟତଃ ଓଡ଼ିଶାର ଦକ୍ଷିଣାଞ୍ଚଳର ଆଦିବାସୀ ଜନଜାତିମାନଙ୍କ ଭାଷା, ସଂସ୍କୃତି, ଜନଜୀବନ ଓ ଅର୍ଥନୈତିକ ଅବସ୍ଥା ଓ ଅସୁବିଧା ଆଦି ଉପରେ ଭିତ୍ତିକରି ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଜ୍ୟେଷ୍ଠମାସ କୃଷ୍ଣପକ୍ଷ ଏକାଦଶୀ ଦିନଟିକୁ ଅପରା ଏକାଦଶୀ ଭାବେ ପାଳନ କରାଯାଏ । କାରଣ ଏହି ଏକାଦଶୀ ବ୍ରତ ପାଳନ ଫଳରେ ବ୍ରତୀ ଅପାର ସଂସାର ସମୂହକୁ ସହଜରେ ପାରି ହୋଇଥାଏ । ଯେତେ ଯେତେ ମହାପାପ ଯଥା କ୍ଷତ୍ରୀୟମାନେ ଯୁଦ୍ଧକ୍ଷେତ୍ରରୁ ପୃଷ୍ଠଭଙ୍ଗ ଦେବା, ମାତା, ପିତା ତଥା ଗୁରୁଜନଙ୍କ ନିନ୍ଦା କରିବା, ବ୍ରହ୍ମହତ୍ୟା କରିବା, ଗୋହତ୍ୟା କରିବା, ପରସ୍ତ୍ରୀକୁ ହରଣ କରିବା, ମିଥ୍ୟା କହିବା ମିଥ୍ୟା ବେଦ ପଢ଼ିବା, ମିଥ୍ୟା ଶାସ୍ତ୍ର ଲେଖିବା ଏବଂ ମିଥ୍ୟା ବିଦ୍ୟା ଇତ୍ୟାଦି ଅଭ୍ୟାସ କରିବା ଜନିତ ଯେତେ ଅପରାଧ ଓ ପାପ ଯେଉଁଥିରେ ନର୍କଦଶା ହେବା କଥା, ଏହି ଏକାଦଶୀ ପାଳନରେ ତାହା ନାଶ ହୋଇ ବ୍ରତୀକୁ ବୈକୁଣ୍ଠାସନ ମିଳେ । ପୁନଶ୍ଚ କୁହାଯାଇଛି ଯେ ଏହି ଏକାଦଶୀ ପାଳନ ଫଳରେ ତିନି ପୁଷ୍କର ସ୍ନାନ, କାର୍ତ୍ତିକ ସ୍ନାନ ଏବଂ ଗଙ୍ଗା ସ୍ନାନ ଇତ୍ୟାଦିର ପୁଣ୍ୟଫଳ ମିଳିଥାଏ । ସିଂହରାଶିର ଲୋକେ ଗୁରୁବାର ଦିନ ଗୋମତୀରେ ସ୍ନାନ କରିବା, କୁମ୍ଭରାଶିର ଲୋକେ କେଦାରନାଥଙ୍କୁ ଦର୍ଶନ କରିବା ଏବଂ ବଦ୍ରିକା ଆଶ୍ରମରେ ବାସ କରିବା ଫଳରେ ଯେଉଁଫଳ ମିଳେ ଅଥବା ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ସମୟରେ କୁରୁକ୍ଷେତ୍ରରେ ସ୍ନାନକଲେ ଯେଉଁ ପୁଣ୍ୟଫଳ ମିଳେ, ତାହା କେବଳ ଏହି ଏକାଦଶୀ ବ୍ରତ ପାଳନ ଫଳରେ ମିଳିଥାଏ ।ଏକଥା ମଧ୍ୟ କୁହାଯାଇଛି ଯେ ହାତୀ, ଘୋଡ଼ା ତଥା ଯଜ୍ଞରେ ସ୍ୱର୍ଣ୍ଣଦାନ କଲେ ଯେଉଁ ଫଳ ମିଳେ, ତାହାମଧ୍ୟ ଏହି ଏକାଦଶୀ ପାଳନରେ ମିଳିଥାଏ । ଏହି ଏକାଦଶୀ ପାଳନ ଫଳରେ ଭୂମି, ସ୍ୱର୍ଣ୍ଣ, ଗୋ ବା କନ୍ୟାଦାନ ପୁଣ୍ୟର ଆବଶ୍ୟକତା ନଥାଏ । ପାପରୂପୀ ବୃକ୍ଷ ଛେଦନ ପାଇଁ ଏହା ଏକ କୁରାଢ଼ି ସ୍ୱରୂପ ଅଥବା ସିଂହକୁ ଦେଖି ମୃଗ ପଳାଇବା ପରି, ଏହି ଏକାଦଶୀ ଯିଏ ପାଳନ କରେ ତାକୁ ପାପ ସ୍ପର୍ଶ କରେନାହିଁ ଅର୍ଥାତ୍ ତାଠାରୁ ଦୂରେଇ ଯାଏ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ (ଜନ୍ମ: ୧୫ ଡିସେମ୍ବର ୧୯୪୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ପ୍ରଫୁଲ୍ଲ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ୧୯୬୭ ଓ ୧୯୭୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଯାଜପୁର ପଶ୍ଚିମରୁ ଯଥାକ୍ରମେ ୪ର୍ଥ, ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୯୦, ୧୯୯୫, ୨୦୦୦, ୨୦୦୪ ଓ ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଇବୋଲା ଭୂତାଣୁ ରୋଗ (English: Ebola virus disease ବା EVD କିମ୍ବା Ebola hemorrhagic fever ବା EHF) ମଣିଷ ଦେହରେ ହେଉଥିବା ଏକ ରୋଗ ଯାହା ଇବୋଲା ଭୂତାଣୁ ଦ୍ୱାରା ହୁଏ । ଭୂତାଣୁ ସଂସ୍ପର୍ଶରେ ଆସିବାର ୨ ଦିନଠାରୁ ୩ ସପ୍ତାହ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଜ୍ୱର, ତଣ୍ଟି ଘାଆ, ମାଂସ ପେଶୀ ଯନ୍ତ୍ରଣା, ଓ ମୁଣ୍ଡ ବ୍ୟଥା ଏହାର ମୂଖ୍ୟ ଲକ୍ଷଣ । ଏହା ପରେ ପରେ ଓକାଳ, ବାନ୍ତି, ଡାଇରିଆ ବା ତରଳ ଝାଡା ହୁଏ ଓ ଏହା ସହ ଯକୃତ ଓ ବୃକକ ଦ୍ୱୟର କାର୍ଯ୍ୟ କ୍ଷମତା କମିଯାଏ । ଏହି ସମୟରେ ଦେହ ଭିତରେ ଓ ବାହାରେ ରକ୍ତ ସ୍ରାବ ମଧ୍ୟ ଆରମ୍ଭ ହୁଏ ।. ସଂକ୍ରମିତ ପଶୁମାନଙ୍କ (ମାଙ୍କଡ କିମ୍ବା ଫୃଟ ବ୍ୟାଟ/ fruit bat ) ରକ୍ତ ବା ଦେହର ତରଳ ପଦାର୍ଥର ସଂସ୍ପର୍ଶରେ ଆସିଲେ ଏହି ଜୀବାଣୁ ସୁସ୍ଥ ଲୋକ ଦେହକୁ ଯାଏ । ବାୟୁ ମାଧ୍ୟମକୁ କିନ୍ତୁ ଏହାର ବିସ୍ତାରର ପ୍ରମାଣ ମିଳି ନାହିଁ ।. । ଫୃଟ ବ୍ୟାଟଦ୍ୱାରା (fruit bat) ଏହି ଜୀବାଣୁ ବ୍ୟାପିଲେ ମଧ୍ୟ ତାହାକୁ ରୋଗ ହୁଏ ନାହିଁ । ସଂକ୍ରମିତ ମଣିଷଠାରୁ ଅନ୍ୟ ମଣିଷ ସଂକ୍ରମିତ ହୁଏ । ବୀର୍ଯ୍ୟ ମାଧ୍ୟମରେ ପୁରୁଷ ଦୁଇ ମାସ ପର୍ଯ୍ୟନ୍ତ ଏହି ରୋଗ ସଂକ୍ରମିତ କରି ପାରିବ । ଏହି ରୋଗ ନିର୍ଣ୍ଣୟ ନିମନ୍ତେ ପ୍ରଥମେ ମ୍ୟାଲେରିଆ, କଲେରା ଓ ଅନ୍ୟାନ୍ୟ ଭୂତାଣୁ ରକ୍ତସ୍ରାବୀ ରୋଗ ନ ଥିବା ସ୍ଥିର କରିବାକୁ ହୁଏ । ରୋଗ ନିର୍ଣ୍ଣୟ ନିମନ୍ତେ ଭୂତାଣୁ ଆଣ୍ଟିବଡି, ଭୂତାଣୁ ଆର.ଏନ.ଏ.
ସଲିଲ୍ ମିତ୍ର (୭ ଅପ୍ରେଲ ୧୯୬୭ - ୪ ଜୁନ ୨୦୧୯) ଜଣେ ଓଡ଼ିଆ ହାସ୍ୟ ଅଭିନେତା ଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଦୂରଦର୍ଶନ ଓ ବିଭିନ୍ନ ମଞ୍ଚରେ ଅଭିନୟ କରୁଥିଲେ । କରଞ୍ଜିଆ, ମୟୂରଭଞ୍ଜରେ ଜନ୍ମିତ ସଲିଲ ୧୯୯୯ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ କଥାଚିତ୍ର, ଧାରାବାହିକ, ଆଧୁନିକ ଗୀତ, ଭଜନ, ନାଟକ ଆଦିରେ ଅଭିନୟ କରିଥିଲେ । ଇ ଟିଭି ଓଡ଼ିଆରେ ପ୍ରସାରିତ ବଡ଼ ଘର ବଡ଼ ଗୁମର କଥା ଭଳି କିଛି ଧାରାବାହିକରେ ସେ ଖଳନାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୨ ମଇ ୨୦୧୯ରେ ସେ ଏକ ଦୁର୍ଘଟଣାର ଶିକାର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ଏବଂ ୪ ଜୁନ ୨୦୧୯ରେ ସେ ମୃତ୍ୟୁବରଣ କରିଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
କଙ୍କାଳ ଶବ୍ଦର ଇଂରାଜୀ ପ୍ରତିଶବ୍ଦ ହେଉଛି ସ୍କେଲିଟନ୍ (Skeleton) ଯାହାକି ଏକ ଗ୍ରିକ୍ ଶବ୍ଦ ଓ ତାହାର ଅର୍ଥ ହେଉଛି ଶୁଷ୍କ ଦେହ ବା ମମି (skeletos = "dried-body", "mummy") । ଏହା ଶରୀରର ଏପରି ଏକ ଅଙ୍ଗ ଯିଏ ଜୀବର ସମୁଦାୟ ଶରୀରକୁ ଆଶ୍ରା (Support) ଦିଏ । ଦୁଇ ପ୍ରକାର କଙ୍କାଳ ଅଛି: ବହିଃ କଙ୍କାଳ ଓ ଅନ୍ତଃ କଙ୍କାଳ । ଯେଉଁ କଙ୍କାଳ ଜୀବ ଶରୀରର ବହିଃ ଆବରଣ ବା ଘୋଡ଼ଣୀ ଭଳି ଥାଏ ତାହାକୁ ବହିଃ କଙ୍କାଳ କହନ୍ତି । ଶରୀର ଅଭ୍ୟନ୍ତରରେ ଥିବା କଙ୍କାଳକୁ ଅନ୍ତଃ କଙ୍କାଳ କହନ୍ତି ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ଅରୁଣ ମନ୍ତ୍ରୀ ଜଣେ ଓଡ଼ିଆ ଗୀତିକାର, କବି ଓ କ୍ଷୁଦ୍ରଗଳ୍ପ ଲେଖକ । ସେ ଭଜନ, ଚଳଚ୍ଚିତ୍ର, ଯାତ୍ରା ଓ ଆଲବମ ପାଇଁ ଗୀତ ଲେଖନ୍ତି । ସେ ୨୦୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ଗୀତ ଲେଖିଛନ୍ତି । ୧୯୯୫ ମସିହାରେ, ତାଙ୍କ ଲିଖିତ ଗୀତ ପ୍ରଥମ ଥର ପାଇଁ ଆକାଶବାଣୀ କଟକ କେନ୍ଦ୍ରରୁ ପ୍ରସାରିତ ହୋଇଥିଲା । ତାଙ୍କ ଲିଖିତ ପ୍ରଥମ ଭଜନ ଥିଲା ତୁଳସୀ କ୍ଷେତ୍ରରେ ବଳଦେବ ଖ୍ୟାତ । ଆଲବମ ଗୀତ ଅନାମିକା ନାୟିକା ସେ ହେଲା ମୋର ପ୍ରେମିକା ତାଙ୍କୁ ଲୋକଲୋଚନକୁ ଆଣିଥିଲା । ୨୦୦୦ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର କାଶିଆ କପିଳା ଜରିଆରେ ସେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ଲେଖିବା ଆରମ୍ଭ କରିଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମୋହନ ଚରଣ ମାଝୀ ([mohɔnɔ t͡ʃɔɾɔɳɔ mad͡ʒʱi] (); ଜନ୍ମ: ୬ ଜାନୁଆରୀ ୧୯୭୨) ଜଣେ ଭାରତୀୟ ରାଜନେତା ଏବଂ ଓଡ଼ିଶାର ୧୫ଶ ତଥା ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଅଟନ୍ତି । ସେ ଭାରତୀୟ ଜନତା ପାର୍ଟିରୁ ଜଣେ ବିଧାୟକ ଭାବରେ ୨୦୦୦, ୨୦୦୯ ଓ ୨୦୧୯ ଓ ୨୦୨୪ ମସିହାରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓ ୧୬ଶ ଓ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।