ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ସଲିଲ୍ ମିତ୍ର (୭ ଅପ୍ରେଲ ୧୯୬୭ - ୪ ଜୁନ ୨୦୧୯) ଜଣେ ଓଡ଼ିଆ ହାସ୍ୟ ଅଭିନେତା ଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଦୂରଦର୍ଶନ ଓ ବିଭିନ୍ନ ମଞ୍ଚରେ ଅଭିନୟ କରୁଥିଲେ । କରଞ୍ଜିଆ, ମୟୂରଭଞ୍ଜରେ ଜନ୍ମିତ ସଲିଲ ୧୯୯୯ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ କଥାଚିତ୍ର, ଧାରାବାହିକ, ଆଧୁନିକ ଗୀତ, ଭଜନ, ନାଟକ ଆଦିରେ ଅଭିନୟ କରିଥିଲେ । ଇ ଟିଭି ଓଡ଼ିଆରେ ପ୍ରସାରିତ ବଡ଼ ଘର ବଡ଼ ଗୁମର କଥା ଭଳି କିଛି ଧାରାବାହିକରେ ସେ ଖଳନାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୨ ମଇ ୨୦୧୯ରେ ସେ ଏକ ଦୁର୍ଘଟଣାର ଶିକାର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ଏବଂ ୪ ଜୁନ ୨୦୧୯ରେ ସେ ମୃତ୍ୟୁବରଣ କରିଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜ୍ୟୋତି ରଞ୍ଜନ ନାୟକ (ଜନ୍ମ: ୨୪ ଅକ୍ଟୋବର ୧୯୯୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତା । ସେ ୨୦୧୬ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଶ୍ରୀକାନ୍ତ ଗୌତମଙ୍କଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମ ମିଠା ମିଠା ଯୋଡ଼ିରେ ଭାଗ ନେଇ ବିଜେତା ହେବା ପରେ ଜ୍ୟୋତି ଓଡ଼ିଆ କଥାଚିତ୍ର ମିଠା ମିଠାରେ ନାୟକ ଭାବରେ ଅଭିନୟ କରିଥିଲେ, ମାତ୍ର ଏହି କଥାଚିତ୍ରଟି ମୁକ୍ତିଲାଭରେ ବିଳମ୍ବ ହୋଇଥିଲା । ଓଡ଼ିଆ କଥାଚିତ୍ର ଜଗତରେ ଜ୍ୟୋତିଙ୍କର ପ୍ରଥମ ମୁକ୍ତିଲାଭ ଚଳଚ୍ଚିତ୍ର ହେଉଛି ଦେଲେ ଧରା କଥା ସରେ । ଏହାପରେ ସେ ନିଝୁମ ରାତିର ସାଥୀ, ଦିଲ୍ କା ରାଜା, ତୁ ମୋ ହିରୋ ଆଦି କଥାଚିତ୍ରରେ ଅଭିନୟ କରିଥିଲେ ।
ମିସ୍ କଲ୍ ଫ୍ରେଣ୍ଡ୍ ୨୦୨୫ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ରୱାଲ ଓ ନମିତା ଅଗ୍ରୱାଲ । ଜମେଶ ଶୁକ୍ଳା ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଏବଂ ନିର୍ମଳ ନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସୁଧାଂଶୁ ମୋହନ ସାହୁ । ସଙ୍ଗୀତକାର ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଅବନୀ କୁମାର ବରାଳ(୩ ଜୁନ୍ ୧୯୩୫-୭ ନଭେମ୍ବର ୨୦୧୩) ଓଡ଼ିଶାର ଶିକ୍ଷାବିଦ ଓ ଶିକ୍ଷକ ସଂଘ ନେତା ଥିଲେ । ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ)ର ରାଜ୍ୟ ସମ୍ପାଦକ ଭାବେ ଦୀର୍ଘକାଳ ଦାୟିତ୍ୱ ତୁଲାଇଥିଲେ । ଅବନୀ ଜଗତସିଂହପୁର ଜିଲ୍ଲା ବିରିଡ଼ି ବ୍ଳକ ଅନ୍ତର୍ଗତ ହଳଦିଆପଡା ଗ୍ରାମରେ ୧୯୩୫, ଜୁନ୍ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ ଓ କଟକରେ ଓଡ଼ିଆରେ ସ୍ନାତକୋତ୍ତର ଶିକ୍ଷା ଲାଭ କରିଥିଲେ । ଶିକ୍ଷା ସମାପ୍ତି ପରେ ସେ ଖୋର୍ଦ୍ଧାର ପ୍ରାଣନାଥ ମହାବିଦ୍ୟାଳୟରେ ଅଧ୍ୟାପନା ବୃତ୍ତିରେ ଯୋଗଦେଇଥିଲେ । ୧୯୯୪ମେ ମାସରେ ସେଠାରୁ ଅଧ୍ୟକ୍ଷ ଭାବେ ଅବସର ଗ୍ରହଣ କରିଥିଲେ । ତାଙ୍କର ମହାବିଦ୍ୟାଳୟ ଅଧ୍ୟୟନ ବେଳରୁ ତାଙ୍କ ସାଂଗଠନିକ ଦକ୍ଷତା ଓ ନେତୃତ୍ୱର ପ୍ରକାଶିତ ହୋଇଥିଲା । ବାମପନ୍ଥୀ ଆଦର୍ଶରେ ଉଦ୍ବୁଦ୍ଧ ହୋଇ ସେ ଅଖିଳ ଭାରତୀୟ ଛାତ୍ର ସଂଘ, ଗଣତାନ୍ତ୍ରିକ ଯୁବ ସଂଘ ଓ ଇସ୍କସ୍ ଭଳି ସଙ୍ଗଠନରେ ସାମିଲ ହୋଇଥିଲେ । କମ୍ୟୁନିଷ୍ଟ ପାର୍ଟିର ମୁଖପାତ୍ର 'ନୂଆ ଦୁନିଆ'ର ପ୍ରତିଷ୍ଠାତା ସମ୍ପାଦକ ଭାବେ ସାମ୍ୟବାଦୀ ଆଦର୍ଶର ପ୍ରଚାର କରାଇଥିଲେ । ତାଙ୍କ ନେତୃତ୍ୱରେ ଶିକ୍ଷକ ମହାସଂଘ ଗଠନ କରାଯାଇଥିଲା । ମହାସଂଘର ଛତାତଳେ ଅନେକ ଆନ୍ଦୋଳନାତ୍ମକ ପଦକ୍ଷେପଦ୍ୱାରା ଶିକ୍ଷକ ସମାଜର ଅନେକ ସମସ୍ୟାର ସମାଧାନ କରାଇଥିଲେ । ସର୍ବଭାରତୀୟସ୍ତରରେ ଜଣେ ଆଗଧାଡ଼ିର ଶିକ୍ଷକ ନେତା ଭାବେ ତାଙ୍କର ପରିଚିତ ଥିଲେ । ବିଶ୍ୱ ଶିକ୍ଷକ ମହାସଂଘର ସେ ଉପସଭାପତି ପଦ ମଣ୍ଡନ କରିଥିଲେ । ବିଶ୍ୱଦରବାରରେ ସେ ଶିକ୍ଷା ଓ ଶିକ୍ଷକ ଆନ୍ଦୋଳନ ସମ୍ପର୍କିତ ବହୁ ସମ୍ମିଳନୀକୁ ଭାରତର ପ୍ରତିନିଧିତ୍ୱ କରିଥିଲେ । ରାଜ୍ୟରେ ଶିକ୍ଷା ସଂସ୍କାର ଓ ଶିକ୍ଷକ କର୍ମଚାରୀଙ୍କ ସ୍ୱାର୍ଥରକ୍ଷା କ୍ଷେତ୍ରରେ ତାଙ୍କର ଅବଦାନ ରହିଛି । ବିଭିନ୍ନ ଗଣମାଧ୍ୟମରେ ସ୍ତମ୍ଭକାର ଭାବେ ଓ ଦୁଇ ଡଜନରୁ ଅଧିକ ପୁସ୍ତକ ରଚନା ସାହିତ୍ୟ ଜଗତରେ ବିଶେଷ ଖ୍ୟାତି ରହିଛି । ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ସେ ମଧ୍ୟ ସମ୍ବର୍ଦ୍ଧିତ ହୋଇଛନ୍ତି । ଏହା ବ୍ୟତୀତ ବହୁ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଅନେକ ସମ୍ମାନ ଓ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ପ୍ରକାଶିତ ରଚନାବଳୀ ଜାରଜ (ଗଳ୍ପ) ୧୯୫୭ ଉତ୍ତର ବସନ୍ତ (ଗଳ୍ପ) ୧୯୭୧ ଅବନୀ ବରାଳଙ୍କ ଭିନ୍ନସ୍ୱାଦର ଗଳ୍ପ ଅବନୀ ବରାଳଙ୍କ ସ୍ୱନିର୍ବାଚିତ ଭିନ୍ନସ୍ୱାଦର ଗଳ୍ପ ପ୍ରେମର ଅନ୍ୱେଷଣରେ ଗୋଟିଏ ତରୁଣୀ (ଉପନ୍ୟାସ) ୧୯୫୯ ଅପରାହ୍ନର ଛାୟା (ଉପନ୍ୟାସ) ୧୯୭୦, ୧୯୯୮ ସଂଳାପ : ନିର୍ଜ୍ଜନତାର (ଉପନ୍ୟାସ) ୧୯୯୦ ମାୟାବିନୀ ମଞ୍ଚ (ଉପନ୍ୟାସ) ଏ ରାତ୍ରି ମାୟାବିନୀ ୧୯୯୫ ମଞ୍ଚକନ୍ୟାର କାହାଣୀ (ଉପନ୍ୟାସ) ୧୯୬୫, ୧୯୬୮ ଇସ୍ପାତ (ଅନୁବାଦ ଉପନ୍ୟାସ) ମୂଳ : ନିକୋଲାଇ ଅଷ୍ଟ୍ରୋଭସ୍କି 'How the Steel was Tempered' ଲାଲ୍ ଅଝାଲ୍ (ଅନୁବାଦ କିଶୋର ଉପନ୍ୟାସ) ୧୯୯୨ ମାର୍କ୍ସବାଦୀ ସାହିତ୍ୟ ତତ୍ତ୍ୱ (ସମାଲୋଚନା) ୧୯୮୦ ଜାତୀୟ ଶିକ୍ଷାନୀତି : ୧୯୮୬ ଶିକ୍ଷାର ଅନେକ ସମସ୍ୟା ଶିକ୍ଷାର କେତେକ ସମସ୍ୟା ଶିକ୍ଷାର କେତେକ ବ୍ୟଥା ଆସିଛି ମୁଁ ଆସିଛି (ଅନନ୍ତ ପଟ୍ଟନାୟକଙ୍କ ଜୀବନୀ) ଶିକ୍ଷାର ସ୍ଥିତି ଓ ଦୁଃସ୍ଥିତି ଶିକ୍ଷାର ଅଧିକାର ଦୁନିଆଁର ଚଲାପଥରୁ ସାଉଁଟା ମଣିମାଣିକ୍ୟ (ଆତ୍ମଜୀବନୀ) ହିରୋସୀମା ନାଗାସାକୀ ଆଉ ନୁହେଁ ଆଉ ନୁହେଁ ଶିକ୍ଷା ବଞ୍ଚାଅ : ଓଡ଼ିଶା ବଞ୍ଚାଅ (୩ଖଣ୍ଡ) ସତ କହି ପଛେ ମଲେ ମରିବି ଶିକ୍ଷା ବ୍ୟବସ୍ଥା ଠିକ୍ ଚାଲିଛି ତ !
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ନିଗ୍ଧା ମହାନ୍ତି ଜଣେ ଜଣାଶୁଣା ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଅନେକ ଓଡ଼ିଆ ଓ ବଙ୍ଗଳା ସିନେମାରେ କାମ କରିଛନ୍ତି । ୧୯୮୮ ଜାନୁଆରୀରେ ମୁକ୍ତିଲାଭ କରିଥିଲା ଚଳଚ୍ଚିତ୍ର ଲାଲ୍ପାନ ବିବି ନବାଗତା ଅଭିନେତ୍ରୀଭାବେ ମହାନ୍ତି ଅଭିନୟ ଆରମ୍ଭ କରିଥିଲେ । ସେ ନାୟିକା, ସହ-ନାୟିକା, ନକାରାତ୍ମକ ଭୂମିକାରେ ଏବଂ ଟେଲିଭିଜନ ଧାରାବାହିକମାନଙ୍କରେ ପ୍ରମୁଖ ଭୂମିକାରେ ମଧ୍ୟ ଅଭିନେତ୍ରୀ ଭାବେ ଅଭିନୟ କରିଛନ୍ତି । ସେ ପଚାଶରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି । ତରଙ୍ଗ ଟିଭିରେ ପ୍ରସାରିତ "ସ୍ୱାଭିମାନ" ଓ "ଅମ୍ବିକାଖୁଡ଼ୀଙ୍କ ହାଣ୍ଡିଶାଳ" ତାଙ୍କ ଅଭିନୀତ ଦୁଇଟି ଲୋକପ୍ରିୟ ଧାରାବାହିକ କାର୍ଯ୍ୟକ୍ରମ । ସେ ଭାରତୀୟ ଡାକ ବିଭାଗରେ କାର୍ଯ୍ୟ କରନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷାର ସାମୁହିକ ବ୍ୟବହାର ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ଓଡ଼ିଆ ଭାଷା ଆନ୍ଦୋଳନ ନାମରେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଢେଙ୍କାନାଳ ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ଢେଙ୍କାନାଳ ସହର ଏହି ଜିଲାର ପ୍ରଶାସନିକ ମୁଖ୍ୟସ୍ଥଳ ଯେଉଁଠି ସବୁ ସରକାରୀ କାର୍ଯ୍ୟାଳୟ ଆଉ ବେସରକାରୀ କମ୍ପାନୀର ମୁଖ୍ୟ କାର୍ଯ୍ୟାଳୟସବୁ ଅଛି । ଢେଙ୍କାନାଳ ଜିଲ୍ଲା ମଧ୍ଯ ପୂର୍ବତନ ଗଡ଼ଜାତ ଜିଲ୍ଲା ମଧ୍ୟରୁ ଅନ୍ୟତମ। ଢେଙ୍କାନାଳ ଜିଲ୍ଲା ବିଭିନ୍ନ ପ୍ରକାର ପ୍ରାକୃତିକ ସମ୍ପଦ, ପ୍ରାକୃତିକ ସୌନ୍ଦର୍ଯ୍ୟ ରେ ପରିପୂର୍ଣ୍ଣ। ଢେଙ୍କାନାଳ ଜିଲ୍ଲା ଏହାର ସ୍ଵତନ୍ତ୍ର ସଂସ୍କୃତି, ପରମ୍ପରା ପାଇଁ ମଧ୍ୟ ଓଡ଼ିଶା ରେ ଆଦୃତି ଲାଭ କରିଛି। ଯୋରନ୍ଦା ମେଳା, ଭୁବନ ଦଶହରା ବଳଦ ଯାତ୍ରା , ଢେଙ୍କାନାଳ ଲକ୍ଷ୍ମୀ ପୂଜା, ଭୁବନ କଂସା ବାସନ, ଢେ଼ଙ୍କାନାଳ ବରା ପାଇଁ ମଧ୍ୟ ଢେଙ୍କାନାଳ ଜିଲ୍ଲା ଓଡ଼ିଶା ରେ ନିଜର ସ୍ଵତନ୍ତ୍ର ସ୍ଥାନ ବଜାୟ ରଖିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ପାର୍ବତୀ ଗିରୀ (୧୯ ଜାନୁଆରୀ ୧୯୨୬- ୧୯୯୫) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ, ସେ ପଶ୍ଚିମ ଓଡ଼ିଶାର ମଦର ଟେରେସା ଭାବେ ପରିଚିତ । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ନାରୀ ସ୍ୱାଧୀନତା ସଂଗ୍ରାମୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଛନ୍ତି । ସେ ଅବିଭାଜିତ ସମ୍ବଲପୁର ଜିଲ୍ଲା ତଥା ବର୍ତ୍ତମାନର ବରଗଡ଼ ଜିଲ୍ଲାର ବିଜେପୁର ନିକଚବର୍ତ୍ତୀ ସମଲାଇପଦର ଗ୍ରାମରେ ୧୯ ଜାନୁଆରୀ ୧୯୨୬ ମସିହାରେ ଜନ୍ମଗ୍ରହଣ କରିଥିଲେ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ତଥା ବାଚସ୍ପତି ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪ ମସିହାରେ ସେ ପ୍ରଥମ କରି ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୨୪ ମସିହାରେ, ୧୭ଶ ଓଡ଼ିଶା ବିଧାନ ସଭାରେ ବାଚସ୍ପତି ଭାବରେ ସେ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବୈଶାଳୀ ଡ଼ାଲମିଆ ଜଣେ ଭାରତୀୟ ରାଜନେତ୍ରୀ ଏବଂ ନିର୍ମାଣ କମ୍ପାନୀ M L Dalmiya & Co. Ltd. ଙ୍କ ନିର୍ଦ୍ଦେଶିକା। ସେ ପଶ୍ଚିମବଙ୍ଗ ବିଧାନସଭାର ପୂର୍ବତନ ସଦସ୍ୟା। ୨୦୧୬ ରୁ ଏପ୍ରିଲ ୨୦୨୧ ପର୍ଯ୍ୟନ୍ତ ସେ ବାଲି ବିଧାନସଭା ଆସନ ର ପ୍ରତିନିଧିତ୍ୱ କରିଥିଲେ। ସେ ଭାରତୀୟ କ୍ରିକେଟ ପ୍ରଶାସକ ଓ ବ୍ୟବସାୟୀ ଜଗମୋହନ ଡ଼ାଲମିଆ ଙ୍କ କନ୍ୟା। ୨୦୧୬ ମସିହାରେ ପିତାଙ୍କ ଦେହାନ୍ତ ପରେ ସେ ରାଜନୀତିରେ ପ୍ରବେଶ କରି ଅଖିଳ ଭାରତୀୟ ତୃଣମୂଳ କଂଗ୍ରେସ ରେ ଯୋଗଦେଇଥିଲେ। ସେହି ବର୍ଷରେ ବାଲି ବିଧାନସଭା ମଣ୍ଡଳୀରୁ ନିର୍ବାଚନ ଲଢ଼ିବା ପାଇଁ ଦଳ ତାଙ୍କୁ ଟିକେଟ୍ ଦେଇଥିଲା ଏବଂ ପରେ ସେ ରାଜ୍ୟ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୨ ଜାନୁଆରୀ ୨୦୨୧ ରେ ଦଳବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ବୈଶାଳୀ ଡାଲମିଆଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର କରାଯାଇଥିଲା। ୩୦ ଜାନୁଆରୀ ୨୦୨୧ ରେ ସେ ଭାରତୀୟ ଜନତା ପାର୍ଟି ରେ ଯୋଗଦେଇଥିଲେ। ସେହି ସମୟରେ ଅମିତ ଶାହା ଙ୍କ ଉପସ୍ଥିତିରେ ନୂଆଦିଲ୍ଲୀରେ ତାଙ୍କ ସହିତ ରାଜୀବ ବାନର୍ଜୀ, ପ୍ରବୀର ଘୋଷାଳ, ରଥିନ ଚକ୍ରବର୍ତ୍ତୀ ଏବଂ ରୁଦ୍ରନୀଲ ଘୋଷ ମଧ୍ୟ ଭାଜପାରେ ଯୋଗଦେଇଥିଲେ। ସେ ୨୦୨୧ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବାଲି ବିଧାନସଭା ମଣ୍ଡଳୀରୁ ଭାଜପା ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ, କିନ୍ତୁ ତୃଣମୂଳ କଂଗ୍ରେସ ପ୍ରାର୍ଥୀ ଡା.