ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶାର ମୁଖ୍ୟମନ୍ତ୍ରୀମାନଙ୍କର ତାଲିକା
ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେଉଛନ୍ତି ଭାରତର ଏକ ରାଜ୍ୟ ଓଡ଼ିଶା ସରକାରଙ୍କ ମୁଖ୍ୟ । ଭାରତର ସମ୍ବିଧାନ ଅନୁଯାୟୀ, ରାଜ୍ୟର ରାଜ୍ୟପାଳ ହେଉଛନ୍ତି ନାମମାତ୍ର (ଡି ଜୁରେ) ମୁଖ୍ୟ, କିନ୍ତୁ ପ୍ରକୃତ (ଡି ଫ୍ୟାକ୍ଟୋ) କାର୍ଯ୍ୟନିର୍ବାହୀ କ୍ଷମତା ମୁଖ୍ୟମନ୍ତ୍ରୀଙ୍କ ହାତରେ ନ୍ୟସ୍ତ ଥାଏ । ଓଡ଼ିଶା ବିଧାନ ସଭା ନିର୍ବାଚନ ପରେ, ରାଜ୍ୟପାଳ ସାଧାରଣତଃ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ଦଳ (କିମ୍ବା ମେଣ୍ଟ)କୁ ସରକାର ଗଠନ କରିବା ପାଇଁ ଆମନ୍ତ୍ରଣ କରିଥାନ୍ତି । ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କୁ ନିଯୁକ୍ତ କରନ୍ତି, ଯାହାଙ୍କ ମନ୍ତ୍ରୀପରିଷଦ ବିଧାନସଭା ପ୍ରତି ସାମୂହିକ ଭାବେ ଉତ୍ତରଦାୟୀ ରହିଥାନ୍ତି । ବିଧାନସଭାରେ ଆସ୍ଥା ଥିବା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକାଳ ପାଞ୍ଚ ବର୍ଷ ପାଇଁ ରହିଥାଏ ଏବଂ ଏହି ପଦବୀ ପାଇଁ କୌଣସି କାର୍ଯ୍ୟକାଳ ସୀମା ବା ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ । ମୁଖ୍ୟମନ୍ତ୍ରୀ ବିଧାନସଭାରେ ଗୃହର ନେତା ଭାବରେ ମଧ୍ୟ କାର୍ଯ୍ୟ କରନ୍ତି ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଜିନା ସାମଲ ଜଣେ ଓଡ଼ିଆ ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ଅଭିନୟ କରନ୍ତି । ଜୀନା ଓଡ଼ିଆ କଥାଚିତ୍ର ଫେରିଆ ମୋ ସୁନା ଭଉଣୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରତି ଧାରାବାହିକ ତୁଳସୀ, ଅପା ଏବଂ ତରଙ୍ଗ ଟିଭିରେ ପ୍ରସାରିତ କେମିତି ଏ ବନ୍ଧନରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଧାରାବାହିକ ସହ ଜିନା ଓଡ଼ିଆ ଆଧୁନିକ ଆଲବମ୍ ଏବଂ କିଛି କାର୍ଯ୍ୟକ୍ରମରେ ବିଚାରକ ଭାବରେ କାର୍ଯ୍ୟ କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକା
ଓଡ଼ିଶାର ରାଜ୍ୟପାଳ ହେଉଛନ୍ତି ଭାରତର ଏକ ରାଜ୍ୟ ଓଡ଼ିଶାର ସାମ୍ବିଧାନିକ ମୁଖ୍ୟ । କେନ୍ଦ୍ର ସ୍ତରରେ ଭାରତର ରାଷ୍ଟ୍ରପତିଙ୍କର ଯେପରି କ୍ଷମତା ଓ କାର୍ଯ୍ୟାବଳୀ ରହିଛି, ରାଜ୍ୟ ସ୍ତରରେ ରାଜ୍ୟପାଳଙ୍କର ମଧ୍ୟ ସମାନ କ୍ଷମତା ଓ କାର୍ଯ୍ୟାବଳୀ ରହିଥାଏ । ସେମାନେ ଭାରତର ରାଷ୍ଟ୍ରପତିଙ୍କ ଦ୍ୱାରା ନିଯୁକ୍ତ ହୋଇ ରାଜ୍ୟରେ ଅବସ୍ଥାପିତ ହୁଅନ୍ତି ଏବଂ ସାଧାରଣତଃ ସେମାନେ ଯେଉଁ ରାଜ୍ୟର ଶାସନ ଦାୟିତ୍ୱରେ ଥାଆନ୍ତି, ସେହି ରାଜ୍ୟର ସ୍ଥାନୀୟ ବାସିନ୍ଦା ହୋଇନଥାନ୍ତି । ରାଷ୍ଟ୍ରପତି କେଉଁ ଆଧାରରେ ପ୍ରାର୍ଥୀମାନଙ୍କୁ ମୂଲ୍ୟାୟନ କରନ୍ତି, ସେହି ବିଷୟରେ ଭାରତର ସମ୍ବିଧାନରେ କୌଣସି ଉଲ୍ଲେଖ ନାହିଁ । ରାଜ୍ୟପାଳ ନାମମାତ୍ର ମୁଖ୍ୟ ଭାବରେ କାର୍ଯ୍ୟ କରୁଥିବା ବେଳେ ପ୍ରକୃତ କ୍ଷମତା ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରୀପରିଷଦଙ୍କ ହାତରେ ନ୍ୟସ୍ତ ଥାଏ । ୩ ଜାନୁଆରୀ ୨୦୨୫ ଠାରୁ ହରିବାବୁ କମ୍ଭମପତି ବର୍ତ୍ତମାନର ରାଜ୍ୟପାଳ ଭାବରେ ଦାୟିତ୍ୱ ନିର୍ବାହ କରୁଛନ୍ତି । ଯଦି ୮ ଜଣ କାମଚଳା ରାଜ୍ୟପାଳ ଏବଂ ୧ ଜଣ ଅତିରିକ୍ତ ଦାୟିତ୍ୱରେ ଥିବା ରାଜ୍ୟପାଳଙ୍କୁ ହିସାବକୁ ନିଆଯାଏ, ତେବେ ଓଡ଼ିଶାରେ ସର୍ବମୋଟ ୩୬ ଜଣ ରାଜ୍ୟପାଳ କାର୍ଯ୍ୟ କରିଛନ୍ତି ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ରୁଦ୍ର ପାଣିଗ୍ରାହୀ, ଜଣେ ଓଡ଼ିଆ କଥାଚିତ୍ର ଅଭିନେତା । ସେ ୨୦୧୧ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ୨୦୧୧ ମସିହାରେ ସେ ନାରାୟଣ ଘଡ଼େଇଙ୍କ ନିର୍ଦ୍ଦେଶିତ ଓଡ଼ିଆ କଥାଚିତ୍ର ମନେ ରହିବ ଏ ପ୍ରେମ କାହାଣୀ ଜରିଆରେ ସେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ରୁଦ୍ର ୨୦୧୭ ମସିହାରେ ତରଙ୍ଗ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ ଜୀନାର ଜୀବନସାଥୀରେ ଭାଗନେଇଥିଲେ ଏବଂ ଜୀନାଙ୍କୁ ବିବାହ କରିଥିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଭଞ୍ଜ କିଶୋର ପଟ୍ଟନାୟକ(୧୩ ନଭେମ୍ବର ୧୯୨୨ - ୨୭ ନଭେମ୍ବର ୧୯୯୯) ଜଣେ ଓଡ଼ିଆ ନାଟ୍ୟକାର ଥିଲେ । ସ୍ୱାଧୀନତା ପରବର୍ତ୍ତୀ ସମୟରେ ସେ ଓଡ଼ିଶାର ଜଣେ ଅଗ୍ରଣୀ ନାଟ୍ୟକାର ଥିଲେ । ସେ ୩୫ଟି ନାଟକ, ୮ଟି ଏକାଙ୍କିକା, ୪ଟି କ୍ଷୁଦ୍ରଗଳ୍ପ ପୁସ୍ତକ, କବିତା ଓ "ମରୁପଥୀକ" ନାମରେ ଏକ ଉପନ୍ୟାସ ରଚନା କରିଥିଲେ । ତାଙ୍କର ୧୨ଟି ନାଟକ ବେତାର ଓ ଦୂରଦର୍ଶନରେ ମଧ୍ୟ ପ୍ରସାରିତ ହୋଇଛି । "ଅଗ୍ନି-ପରୀକ୍ଷା" ନାଟକ ପାଇଁ ସେ ୧୯୫୮ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ । "ଜୀବନର ଜୟଯାତ୍ରା" ତାଙ୍କର ଆତ୍ମଜୀବନୀ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ସୁମନ କଲ୍ୟାଣପୁର (ଜନ୍ମ ନାମ ସୁମନ ହେମ୍ମାଦୀ; ୨୮ ଜାନୁଆରୀ ୧୯୩୭) ଜଣେ ଭାରତୀୟ ଶାସ୍ତ୍ରୀୟ ଓ ପ୍ରଚ୍ଛଦପଟ୍ଟ ଗାୟିକା । ତାଙ୍କ କଣ୍ଠକୁ ସବୁବେଳେ ଲତା ମଙ୍ଗେସକରଙ୍କ ସହ ତୁଳନା କରାଯାଇଥାଏ । ୧୯୫୪ ମସିହାରୁ ସୁମନ ପ୍ରଚ୍ଛଦପଟ୍ଟ ଗାୟନ ଆରମ୍ଭ କରିଥିଲେ । ୧୯୬୦ ଓ ୧୯୭୦ ଦଶକରେ ସେ ଜଣେ ଅଗ୍ରଗଣ୍ୟା ପ୍ରଚ୍ଛଦପଟ୍ଟ ଗାୟିକା ଥିଲେ । ସେ ହିନ୍ଦୀ, ବଙ୍ଗଳା, ମରାଠୀ, ଅସମୀୟା , ଭୋଜପୁରୀ, ପଞ୍ଜାବୀ ଓ ଓଡ଼ିଆ ଭାଷାରେ ଅନେକ ଗୀତ ଗାଇଛନ୍ତି । ୨୦୨୩ ମସିହାରେ ତାଙ୍କୁ ପଦ୍ମ ଭୂଷଣ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ନାକରୁ ରକ୍ତସ୍ରାବ (English: epistaxis ବା nosebleed) ଏକ ଲକ୍ଷଣ । ଏହି ଶବ୍ଦଟି ଗ୍ରୀସ ଭାଷାରୁ ((from Greek: ἐπιστάζω (epistazo) to bleed from the nose: ἐπί (epi) - "above", "over" + στάζω (stazo) - "to drip [from the nostrils]")) ଆସିଛି । ଏହା ଏକ ସାଧାରଣ ବେମାରୀ । ଏଥିରେ ନାକରୁ ରକ୍ତ ବହେ । ନାକ ରକ୍ତସ୍ରାବ ଦୁଇ ଭାଗରେ ବର୍ଣ୍ଣନା କରାଯାଏ ଯଥା ସମ୍ମୁଖ ଭାଗ ରକ୍ତସ୍ରାବ ଓ ପୃଷ୍ଠ ଭାଗ ରକ୍ତସ୍ରାବ । ଶେଷୋକ୍ତ ସ୍ରାବ କ୍ୱଚିତ ଦେଖାଯାଏ କିନ୍ତୁ ସଙ୍ଗେ ସଙ୍ଗେ ଡାକ୍ତରୀ ପରାମର୍ଶ ଆବଶ୍ୟକ କରେ । ଅତ୍ୟଧିକ ରକ୍ତସ୍ରାବ ହେଲେ ଲୁହବାହୀ ନଳୀ ମଧ୍ୟ ଦେଇ ରକ୍ତ ଆଖିରେ ପ୍ରବେଶ କରିବା ପରେ ଆଖିରୁ ରକ୍ତ ବହେ । ନାକରୁ ରକ୍ତ ବହି ଖାଦ୍ୟନଳୀକୁ ଯାଇ ପାକସ୍ଥଳୀରେ ପ୍ରବେଶ କରିପାରେ । ରକ୍ତ ତରଳ ବା ମୁଣ୍ଡା ହୁଏ । ରକ୍ତସ୍ରାବ ଦେଖିଲେ ଭୟ ଲାଗେ, କିଛି ରୋଗୀଙ୍କର ଡାକ୍ତରୀ ପରାମର୍ଶ ଦରକାର ହୁଏ କିନ୍ତୁ ଏହା କ୍ୱଚିତ ଘାତକ ହୁଏ । ଏକ ପରିସଂଖ୍ୟାନରୁ ଜଣାଯାଏ, ୧୯୯୯ ମସିହାରେ ଆମେରିକାରେ ୨.୪ ନିୟୁତ ମୃତ୍ୟୁରେ ମାତ୍ର ୪ଟି ଘାତକ ଥିଲା । ରକ୍ତସ୍ରାବ ହେଲେ ମୁଣ୍ଡକୁ ସାମାନ୍ୟ ଆଗକୁ ନୁଏଁଇ ନାକ ପୁଡ଼ାକୁ ୫ରୁ ୨୦ ମିନିଟ ଧରି ଚିପି ଧରିଲେ ରକ୍ତ ଜମାଟ ବାନ୍ଧି ସ୍ରାବ ବନ୍ଦ ହୋଇଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସମାଜ ବିଜ୍ଞାନ ସାମାଜିକ ବ୍ୟବହାର ଓ ଅନୁଷ୍ଠାନର ଏକାଡେମିକ୍ ପାଠ ଅଟେ । ଗୋଟିଏ ସମାଜଶାସ୍ତ୍ର ଭାବରେ ଏହା ଅନୁଭବଜନ୍ୟ ଓ ସମୀକ୍ଷାତ୍ମକ ପଦ୍ଧତି ବ୍ୟବହାର କରି ସାମାଜିକ ବ୍ୟବସ୍ଥା,ସାମାଜିକ ଅବ୍ୟବସ୍ଥା ତଥା ସାମାଜିକ ପରିବର୍ତ୍ତନ ବିଷୟରେ ଜ୍ଞାନ ଅର୍ଜନ କରିବାରେ ସାହାଯ୍ୟ କରେ । ପାରମ୍ପରିକ ଭାବରେ ସମାଜବିଜ୍ଞାନର ଫୋକସ୍ ସାମାଜିକ ସ୍ତରୀକରଣ, ସାମାଜିକ ବର୍ଗ, ସାମାଜିକ ଗତିଶିଳତା, ଧର୍ମ, ଆଇନ୍, ଯୌନତା ଓ ବିପତତା ଆଦି ବିଷୟରେ ରହିଆସିଅଛି ।
କଥା ଭୁବନେଶ୍ୱରରୁ ପ୍ରକାଶିତ ହେଉଥିବା ଏକ ମାସିକ ଓଡ଼ିଆ ଗଳ୍ପ ପତ୍ରିକା । ପତ୍ରିକାଟିର ମାଲିକାନା, ସମ୍ବାଦର ମାଲିକ ଇଷ୍ଟର୍ଣ ମିଡିଆ ଲିମିଟେଡ଼ ପାଖରେ ଅଛି । ଏଥିରେ ଗଳ୍ପ, ପ୍ରବନ୍ଧ ଓ ଉପନ୍ୟାସ ଭଳି କେବଳ କେବଳ ଗଦ୍ୟସାହିତ୍ୟ ପ୍ରକାଶିତ ହୋଇଥାଏ । ଏହି ପତ୍ରିକା ବର୍ଷରେ ଦୁଇଥର ବିଶେଷାଙ୍କ ପ୍ରକାଶ କରିଥାଏ । ଅକ୍ଟୋବର ମାସର ସଂସ୍କରଣଟି "ନବ ପ୍ରତିଭା ବିଶେଷାଙ୍କ"ଭାବରେ ପ୍ରକାଶିତ ହୁଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଲୋକରତ୍ନ କୁଞ୍ଜବିହାରୀ ଦାଶ, (୭ ମାର୍ଚ୍ଚ ୧୯୧୪ - ୧୪ ମାର୍ଚ୍ଚ ୧୯୯୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଅଧ୍ୟାପକ, ଲେଖକ ଓ ଗବେଷକ ଥିଲେ । ତାଙ୍କର ଆମେରିକାରୁ ୟୁରୋପ୍ ଆଫ୍ରିକା ପୁସ୍ତକ ପାଇଁ ସେ ୧୯୬୫-୬୭ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ମୋ କାହାଣୀ ପାଇଁ ୧୯୭୯ କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର ପାଇଥିଲେ । କଲିକତା ଏକାଡେମୀ ଅଫ୍ ଫୋକଲୋର ତାଙ୍କୁ ୧୯୭୮ ମସିହାରେ "ଲୋକରତ୍ନ" ଉପାଧି ପ୍ରଦାନ କରିଥିଲା । ଜଣେ ସାରସ୍ୱତ ସଂଗଠକ ଭାବରେ ସେ ବହୁ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ଥିଲେ ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ସ୍ତନ କର୍କଟ (ଇଂରାଜୀ: Breast cancer) ରୋଗ ସ୍ତନ ତନ୍ତୁରୁ ବାହାରୁଥିବା ଏକ କର୍କଟ ରୋଗର ନାମ । ସ୍ତନ ଭିତରେ ଗୋଟଳି ବାହାରିବା, ସ୍ତନ ଆକାର ବଦଳିବା ଓ କ୍ଷୁଦ୍ର ଗାତ ଦେଖାଯିବା, ସ୍ତନାଗ୍ରରୁ ତରଳ ପଦାର୍ଥ ବାହାରିବା ଓ ଚମରେ ଲାଲ କାତି ଚକଡ଼ା ଦେଖାଯିବା ଆଦି ଲକ୍ଷଣ ଏହି ରୋଗରେ ଦେଖାଯାଏ । ରୋଗ ଦୂରକୁ ବ୍ୟାପିଲେ ହାଡ଼ ଯନ୍ତ୍ରଣା, ଲସିକା ଗ୍ରନ୍ଥି ଫୁଲା, ଛୋଟ ଶ୍ୱାସ କ୍ରିୟା କିମ୍ବା ହଳଦିଆ ଚମ ଆଦି ଲକ୍ଷଣମାନ ଦେଖାଯାଏ ।
ଯୋନୀପଥ ରକ୍ତସ୍ରାବ କୁହାଯାଏ ଯେତେବେଳେ ଯୋନୀପଥରୁ ଯେ କୌଣସି ରକ୍ତସ୍ରାବ ହୁଏ । ଏହା ସାଧାରଣ କିମ୍ବା ଅସ୍ୱାଭାବିକ ଏହି ଦୁଇ ଭାଗରେ ବର୍ଗୀକୃତ ହୋଇଛି । ସନ୍ତାନ ପ୍ରସବକ୍ଷମ ମହିଳାମାନଙ୍କଠାରେ ସାଧାରଣଃ ପ୍ରତ୍ୟେକ ୨୪ରୁ ୩୮ ଦିନରେ ଯୋନୀ ରକ୍ତସ୍ରାବ ହୁଏ ଓ ପ୍ରତ୍ୟେକ ଥର ଏହା ୪.୫ରୁ ୮ଦିନ ପର୍ଯ୍ୟନ୍ତ ରହିଥାଏ ଏବଂ ଫଳସ୍ୱରୂପ ୫ ମିଲି ୮୦ ମିଲି ରକ୍ତ ନଷ୍ଟ ହୋଇଯାଏ । ସନ୍ତାନ ପ୍ରସବକ୍ଷମ ମହିଳାମାନଙ୍କର ଅତ୍ୟଧିକ ରକ୍ତସ୍ରାବ ହେଲେ, ଦୁଇ ଅବଧି ମଧ୍ୟରେ ହେଲେ, ବାରମ୍ବାର ହେଲେ, ଦୀର୍ଘ ସମୟ ଧରି ହେଲେ ବା ଯୌନ ସଙ୍ଗମ ସମୟରେ ରକ୍ତସ୍ରାବ ହେଲେ ତାହାକୁ ଅସ୍ୱାଭାବିକ ରକ୍ତସ୍ରାବ କୁହାଯାଏ ।
ବିପ୍ଳବୀ ଧରଣୀଧର ଭୂୟାଁ (୧୮୬୪-୧୯୧୪) ଓଡ଼ିଶାର ଜଣେ ସୁନାମଧନ୍ୟ ବିପ୍ଳବୀ ଥିଲେ । ୧୮୯୧ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜାଙ୍କ ଅତ୍ୟାଚାର ବିରୁଦ୍ଧରେ ଯେଉଁ ପ୍ରଜାମେଳି ହୋଇଥିଲା, ତାହାର ନେତୃତ୍ୱ ନେଇଥିଲେ ବିପ୍ଳବୀ ଧରଣୀଧର । ଏହି ବିଦ୍ରୋହ କେନ୍ଦୁଝର ରାଜ୍ୟର ନିର୍ଦ୍ଦିଷ୍ଟ ସୀମା ଓ ସମ୍ପୃକ୍ତ ଅଞ୍ଚଳର ଆଦିବାସୀ ସଂପ୍ରଦାୟ ମଧ୍ୟରେ ସୀମିତ ଥିଲେ ମଧ୍ୟ ସମଗ୍ର ଓଡ଼ିଶା ଏପରିକି ସାରା ଭାରତବର୍ଷରେ ଚହଳ ପକାଇଥିଲା । ତାଙ୍କର ସ୍ମୃତିରେ କେନ୍ଦୁଝରର ଧରଣୀଧର ମହାବିଦ୍ୟାଳୟର ନାମକରଣ ହୋଇଛି ।
ଗୌରହରି ଦାସ (ଜନ୍ମ: ୯ ଅକ୍ଟୋବର ୧୯୬୦) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ସ୍ତମ୍ଭକାର । ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି । ସଂପ୍ରତି ସେ ଓଡ଼ିଆ ଖବରକାଗଜ ସମ୍ବାଦର ସାହିତ୍ୟ ସମ୍ପାଦକ ଏବଂ କଥା ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରନ୍ତି । ସେ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଆ ଆଣ୍ଡ କଲ୍ଚର" ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ । ପୂର୍ବରୁ ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଥିଲେ । ତାଙ୍କର ସାହିତ୍ୟ ରଚନା ନିମନ୍ତେ ଅନ୍ୟାନ୍ୟ ପୁରସ୍କାର ଓ ସମ୍ମାନ ସମେତ ସେ ସେ ୨୦୧୨ ମସିହାରେ "କଣ୍ଟା ଓ ଅନ୍ୟାନ ଗଳ୍ପ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଏବଂ ୨୦୦୧ରେ "ନିଜ ସାଙ୍ଗେ ନିଜର ଲଢ଼େଇ" ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ତାଙ୍କର "ବାଘ ଓ ଅନ୍ୟାନ୍ୟ ଗଳ୍ପ" ଗଳ୍ପସଂକଳନ ନିମନ୍ତ ସେ ୨୦୨୨ ମସିହାରେ ଶାରଳା ପୁରସ୍କାର ପାଇଁ ମନୋନୀତ ହୋଇଥିଲେ ।
ଅବନୀ କୁମାର ବରାଳ(୩ ଜୁନ୍ ୧୯୩୫-୭ ନଭେମ୍ବର ୨୦୧୩) ଓଡ଼ିଶାର ଶିକ୍ଷାବିଦ ଓ ଶିକ୍ଷକ ସଂଘ ନେତା ଥିଲେ । ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ)ର ରାଜ୍ୟ ସମ୍ପାଦକ ଭାବେ ଦୀର୍ଘକାଳ ଦାୟିତ୍ୱ ତୁଲାଇଥିଲେ । ଅବନୀ ଜଗତସିଂହପୁର ଜିଲ୍ଲା ବିରିଡ଼ି ବ୍ଳକ ଅନ୍ତର୍ଗତ ହଳଦିଆପଡା ଗ୍ରାମରେ ୧୯୩୫, ଜୁନ୍ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ ଓ କଟକରେ ଓଡ଼ିଆରେ ସ୍ନାତକୋତ୍ତର ଶିକ୍ଷା ଲାଭ କରିଥିଲେ । ଶିକ୍ଷା ସମାପ୍ତି ପରେ ସେ ଖୋର୍ଦ୍ଧାର ପ୍ରାଣନାଥ ମହାବିଦ୍ୟାଳୟରେ ଅଧ୍ୟାପନା ବୃତ୍ତିରେ ଯୋଗଦେଇଥିଲେ । ୧୯୯୪ମେ ମାସରେ ସେଠାରୁ ଅଧ୍ୟକ୍ଷ ଭାବେ ଅବସର ଗ୍ରହଣ କରିଥିଲେ । ତାଙ୍କର ମହାବିଦ୍ୟାଳୟ ଅଧ୍ୟୟନ ବେଳରୁ ତାଙ୍କ ସାଂଗଠନିକ ଦକ୍ଷତା ଓ ନେତୃତ୍ୱର ପ୍ରକାଶିତ ହୋଇଥିଲା । ବାମପନ୍ଥୀ ଆଦର୍ଶରେ ଉଦ୍ବୁଦ୍ଧ ହୋଇ ସେ ଅଖିଳ ଭାରତୀୟ ଛାତ୍ର ସଂଘ, ଗଣତାନ୍ତ୍ରିକ ଯୁବ ସଂଘ ଓ ଇସ୍କସ୍ ଭଳି ସଙ୍ଗଠନରେ ସାମିଲ ହୋଇଥିଲେ । କମ୍ୟୁନିଷ୍ଟ ପାର୍ଟିର ମୁଖପାତ୍ର 'ନୂଆ ଦୁନିଆ'ର ପ୍ରତିଷ୍ଠାତା ସମ୍ପାଦକ ଭାବେ ସାମ୍ୟବାଦୀ ଆଦର୍ଶର ପ୍ରଚାର କରାଇଥିଲେ । ତାଙ୍କ ନେତୃତ୍ୱରେ ଶିକ୍ଷକ ମହାସଂଘ ଗଠନ କରାଯାଇଥିଲା । ମହାସଂଘର ଛତାତଳେ ଅନେକ ଆନ୍ଦୋଳନାତ୍ମକ ପଦକ୍ଷେପଦ୍ୱାରା ଶିକ୍ଷକ ସମାଜର ଅନେକ ସମସ୍ୟାର ସମାଧାନ କରାଇଥିଲେ । ସର୍ବଭାରତୀୟସ୍ତରରେ ଜଣେ ଆଗଧାଡ଼ିର ଶିକ୍ଷକ ନେତା ଭାବେ ତାଙ୍କର ପରିଚିତ ଥିଲେ । ବିଶ୍ୱ ଶିକ୍ଷକ ମହାସଂଘର ସେ ଉପସଭାପତି ପଦ ମଣ୍ଡନ କରିଥିଲେ । ବିଶ୍ୱଦରବାରରେ ସେ ଶିକ୍ଷା ଓ ଶିକ୍ଷକ ଆନ୍ଦୋଳନ ସମ୍ପର୍କିତ ବହୁ ସମ୍ମିଳନୀକୁ ଭାରତର ପ୍ରତିନିଧିତ୍ୱ କରିଥିଲେ । ରାଜ୍ୟରେ ଶିକ୍ଷା ସଂସ୍କାର ଓ ଶିକ୍ଷକ କର୍ମଚାରୀଙ୍କ ସ୍ୱାର୍ଥରକ୍ଷା କ୍ଷେତ୍ରରେ ତାଙ୍କର ଅବଦାନ ରହିଛି । ବିଭିନ୍ନ ଗଣମାଧ୍ୟମରେ ସ୍ତମ୍ଭକାର ଭାବେ ଓ ଦୁଇ ଡଜନରୁ ଅଧିକ ପୁସ୍ତକ ରଚନା ସାହିତ୍ୟ ଜଗତରେ ବିଶେଷ ଖ୍ୟାତି ରହିଛି । ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ସେ ମଧ୍ୟ ସମ୍ବର୍ଦ୍ଧିତ ହୋଇଛନ୍ତି । ଏହା ବ୍ୟତୀତ ବହୁ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଅନେକ ସମ୍ମାନ ଓ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ପ୍ରକାଶିତ ରଚନାବଳୀ ଜାରଜ (ଗଳ୍ପ) ୧୯୫୭ ଉତ୍ତର ବସନ୍ତ (ଗଳ୍ପ) ୧୯୭୧ ଅବନୀ ବରାଳଙ୍କ ଭିନ୍ନସ୍ୱାଦର ଗଳ୍ପ ଅବନୀ ବରାଳଙ୍କ ସ୍ୱନିର୍ବାଚିତ ଭିନ୍ନସ୍ୱାଦର ଗଳ୍ପ ପ୍ରେମର ଅନ୍ୱେଷଣରେ ଗୋଟିଏ ତରୁଣୀ (ଉପନ୍ୟାସ) ୧୯୫୯ ଅପରାହ୍ନର ଛାୟା (ଉପନ୍ୟାସ) ୧୯୭୦, ୧୯୯୮ ସଂଳାପ : ନିର୍ଜ୍ଜନତାର (ଉପନ୍ୟାସ) ୧୯୯୦ ମାୟାବିନୀ ମଞ୍ଚ (ଉପନ୍ୟାସ) ଏ ରାତ୍ରି ମାୟାବିନୀ ୧୯୯୫ ମଞ୍ଚକନ୍ୟାର କାହାଣୀ (ଉପନ୍ୟାସ) ୧୯୬୫, ୧୯୬୮ ଇସ୍ପାତ (ଅନୁବାଦ ଉପନ୍ୟାସ) ମୂଳ : ନିକୋଲାଇ ଅଷ୍ଟ୍ରୋଭସ୍କି 'How the Steel was Tempered' ଲାଲ୍ ଅଝାଲ୍ (ଅନୁବାଦ କିଶୋର ଉପନ୍ୟାସ) ୧୯୯୨ ମାର୍କ୍ସବାଦୀ ସାହିତ୍ୟ ତତ୍ତ୍ୱ (ସମାଲୋଚନା) ୧୯୮୦ ଜାତୀୟ ଶିକ୍ଷାନୀତି : ୧୯୮୬ ଶିକ୍ଷାର ଅନେକ ସମସ୍ୟା ଶିକ୍ଷାର କେତେକ ସମସ୍ୟା ଶିକ୍ଷାର କେତେକ ବ୍ୟଥା ଆସିଛି ମୁଁ ଆସିଛି (ଅନନ୍ତ ପଟ୍ଟନାୟକଙ୍କ ଜୀବନୀ) ଶିକ୍ଷାର ସ୍ଥିତି ଓ ଦୁଃସ୍ଥିତି ଶିକ୍ଷାର ଅଧିକାର ଦୁନିଆଁର ଚଲାପଥରୁ ସାଉଁଟା ମଣିମାଣିକ୍ୟ (ଆତ୍ମଜୀବନୀ) ହିରୋସୀମା ନାଗାସାକୀ ଆଉ ନୁହେଁ ଆଉ ନୁହେଁ ଶିକ୍ଷା ବଞ୍ଚାଅ : ଓଡ଼ିଶା ବଞ୍ଚାଅ (୩ଖଣ୍ଡ) ସତ କହି ପଛେ ମଲେ ମରିବି ଶିକ୍ଷା ବ୍ୟବସ୍ଥା ଠିକ୍ ଚାଲିଛି ତ !
ଆହେ ଦୟାମୟ ବିଶ୍ୱ ବିହାରୀ ଓଡ଼ିଆ ଭାଷାର ଏକ ପ୍ରାର୍ଥନା । ଏହା ଓଡ଼ିଆ ଶିକ୍ଷକ ଓ କବି ରାମକୃଷ୍ଣ ନନ୍ଦଙ୍କ "ଝୁମୁକା" କବିତା ସଂକଳନରୁ ଆନୀତ । ଏହି ପ୍ରାର୍ଥନାଟି ଗାନ୍ଧୀଙ୍କର ସାବରମତୀ ଆଶ୍ରମର ପ୍ରାର୍ଥନା ସଭାରେ ବୋଲାଯାଉଥିଲା। ପାରମ୍ପରିକ ଭାବେ ଏହି ଗୀତଟିକୁ ଓଡ଼ିଶୀ ସଙ୍ଗୀତର ଚକ୍ରକେଳୀ ବୃତ୍ତର ଛାନ୍ଦ ଭାବେ ଗାୟନ କରାଯାଏ । ଗୀତଟି ଓଡ଼ିଆ ଚଳଚ୍ଚିତ୍ର ବଳିଦାନରେ ମଧ୍ୟ ସ୍ଥାନ ପାଇଥିଲା ।