ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମାତୃ ମୃତ୍ୟୁ (ଇଂରାଜୀ ଭାଷାରେ Maternal death ବା maternal mortality) ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନଦ୍ୱାରା ସଂଜ୍ଞାକରଣ କରାଯାଇଛି:- ଗର୍ଭାବସ୍ଥାରେ ବା ଗର୍ଭ ସମାପ୍ତି ପରଠାରୁ ୪୨ ଦିନ ପର୍ଯ୍ୟନ୍ତ ମହିଳାର ଗର୍ଭକାଳ, ଗର୍ଭର ସ୍ଥାନ, ଯେ କୌଣସି ଗର୍ଭ କାରଣରୁ ଅବସ୍ଥାର ଅବନତି ବା ଏହାର ଚିକିତ୍ସା ଇତ୍ୟାଦି କାରଣମାନଙ୍କ ଯୋଗୁ ମୃତ୍ୟୁ ହେଲେ ତାହାକୁ ମାତୃ ମୃତ୍ୟୁ କୁହାଯିବ କିନ୍ତୁ ଦୁର୍ଘଟଣା ବା ସମସାମୟିକ କାରଣରୁ ନୁହେଁ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ଶିଶୁ କନ୍ୟାକୁ ବଞ୍ଚାଅ, ଝିଅକୁ ପଢ଼ାଅ (Beti Bachao, Beti Padhao)(BBBP) ଭାରତ ସରକାରଙ୍କ ଏକ ଯୋଜନା ଯାହାର ଲକ୍ଷ୍ୟ ହେଉଛି ଶିଶୁ କନ୍ୟାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି, ମହିଳାଙ୍କ କାର୍ଯ୍ୟଦକ୍ଷତା ଏବଂ ସାମଗ୍ରିକ ଅଭିବୃଦ୍ଧି । ନରେନ୍ଦ୍ର ମୋଦୀ ୨୨ ଜାନୁଆରୀ ୨୦୧୫ରେ ହରିଆଣାର ପାନିପଥଠାରେ ଏହି ଯୋଜନାର ଉଦ୍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମର ପ୍ରାରମ୍ଭିକ କର୍ପସ ପାଣ୍ଠି ହେଉଛି ୧୦୦ କୋଟି ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ବିଂଶ ଶତାବ୍ଦୀରେ ଗଣିତଶସ୍ତ୍ରରେ ଚମକ ସୃଷ୍ଟି କରିଥିବା ସେଟ ତତ୍ତ୍ୱର (Set Theory) ସ୍ରଷ୍ଟା ହେଉଛନ୍ତି ବିଖ୍ୟାତ ଜର୍ମାନ ଗଣିତଜ୍ଞ ଜର୍ଜ କ୍ୟାଣ୍ଟର (Georg Cantor) । ସୂର୍ଯ୍ୟ ବିହୁନେ ଗ୍ରହମାନେ ଯେପରି ନିଷ୍ପ୍ରଭ ଓ ନିସ୍ତେଜ ହୋଇଯାନ୍ତି, ସେଟ ତତ୍ତ୍ୱ ବିନା ଗଣିତଶାସ୍ତ୍ରର ବିଭିନ୍ନ ବିଭାଗ ଯଥା: ଜ୍ୟାମିତି, ବୀଜଗଣିତ, କଳନ ଶାସ୍ତ୍ର(Calculus) ଇତ୍ୟାଦିର ଅବସ୍ଥା ଠିକ ସେହିପରି ହୋଇଥାନ୍ତା । ସେଟ ତତ୍ତ୍ୱ ଗଣିତକୁ ସହଜ ସୁନ୍ଦର କରିବାରେ, ଜଟିଳ ଗାଣିତିକ ତତ୍ତ୍ୱକୁ ସରଳ ଓ ସାବଲୀଳ ଭାବରେ ବିଶ୍ଲେଷଣ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିପାରିଛି । ସେଟ ସଂଜ୍ଞା ବିହୀନ ଅଟେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ତାରୀନ ଜାହାଁ (ଜନ୍ମ: ୨୬ ଜୁଲାଇ ୧୯୭୬) ଜଣେ ବାଂଲାଦେଶୀ ଅଭିନେତ୍ରୀ, ମଡେଲ ଏବଂ ଗାୟକ । ସେ ମୁଖ୍ୟତଃ ବଙ୍ଗଳାଦେଶୀ ଦୂରଦର୍ଶନର ବିଭିନ୍ନ କାର୍ଯ୍ୟକ୍ରମରେ ଅଭିନୟ କରନ୍ତି । ୧୯୮୭ କିମ୍ବା ୧୯୮୮ ମସିହାରେ, ସେ ଅଭିନୟ, ନୃତ୍ୟ ଏବଂ ଉପସ୍ଥାପିକା ପାଇଁ ନିର୍ମିତ ହୋଇଥିବା ଏକ ଦୂରଦର୍ଶନ ପ୍ରତିଯୋଗିତା କାର୍ଯ୍ୟକ୍ରମ ନୂତନ୍ କୁରିରେ ପ୍ରଥମେ ଭାଗନେଇଥିଲେ । ସେବେଠାରୁ ସେ ଶିଶୁ କଳାକାର ଭାବରେ ଦୂରଦର୍ଶନରେ କାମ କରିବା ଆରମ୍ଭ କରିଥିଲେ । ସେ ମେରିଲ୍ ପ୍ରଥମ ଆଲୋ ପୁରସ୍କାର ୨୦୦୬, ୨୦୦୭ ଓ ୨୦୧୨ ମସିହାରେ ତିନିଥର ଜିତିଛନ୍ତି । ସେ ଦୁଇଟି କଥାଚିତ୍ରରେ କାମ କରିବା ସହ ଥରେ ବଙ୍ଗଳାଦେଶର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଜିତିଛନ୍ତି ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି ।ଏହା ଓଡ଼ିଶାର ଭୁବନେଶ୍ୱରସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
କନ୍ନାଟ ପ୍ଲେସ (कनॉट प्लेस) ଭାରତୀୟ ରାଜଧାନୀ ମହାନଗରର ଏକ ବୃହତ୍ତମ ଆର୍ଥିକ , ବାଣିଜ୍ୟିକ କେନ୍ଦ୍ର । ଏହାକୁ CP କୁହାଯାଇଥାଏ ଓ ଏଠାରେ ଅନେକ ବିଖ୍ୟାତ ଭାରତୀୟ ସଂସ୍ଥାନ ମାନଙ୍କ ମୁଖ୍ୟାଳୟ ରହିଛି ।ନୂଆ ଦିଲ୍ଲୀର ଏହି ମୁଖ୍ୟ ବାଣିଜ୍ୟ ଅଞ୍ଚଳ ବ୍ରିଟିଶ ସମୟରେ ମଧ୍ୟ ଦିଲ୍ଲୀ ସହରର ଗର୍ବର ସ୍ଥାନ ଅଧିକାର କରିଥିଲା ଓ ଏଠାରେ ଅନେକ ଐତିହ ମୂଳକ ସ୍ଥାପତ୍ୟ ରହିଛି । ଏହା " lutyen's ଦିଲ୍ଲୀ" ନାମରେ ଖ୍ୟାତ ଥିଲା ।
ଅଲ୍ ଇଣ୍ଡିଆ ଯୁବ ଫେଡେରେସନ (AIYF) ଭାରତରେ ଏକ ପ୍ରମୁଖ ଯୁବ ସଂଗଠନ ଗଠନ କରିଛି ଯାହାର ଲକ୍ଷ୍ୟ ଯୁବ ଶକ୍ତିକୁ ସଂଗଠିତ କରି ସାମାଜିକ, ସାଂସ୍କୃତିକ ଓ ରାଜନୈତିକ କ୍ଷେତ୍ରରେ ସକ୍ରିୟ ଭାଗୀଦାର କରିବା। ଏହା 1946 ମସିହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ସହ ଯୁଗ୍ମ ସଂସ୍ଥାପନାରେ ନିର୍ମିତ ହୋଇଥିଲା। AIYF ଯୁବକ ମାନଙ୍କର ଶିକ୍ଷା, ନେତୃତ୍ୱ ଦକ୍ଷତା, ସାମାଜିକ ସଚେତନତା ଓ ଅଧିକାର ସୁରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଏ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ଫିଫା ବିଶ୍ୱକପ (ଇଂରାଜୀରେ FIFA World Cup) ହେଉଛି ଅନ୍ତର୍ଜାତୀୟ ଫୁଟବଲ୍ ସଂଘଦ୍ୱାରା ଆୟୋଜିତ ଏକ ଫୁଟବଲ୍ ପ୍ରତିଯୋଗିତା । ଲୋକେ ଏହାକୁ ଫୁଟବଲ୍ ବିଶ୍ୱକପ ବୋଲି ମଧ୍ୟ କହିଥାନ୍ତି । ଏଥିରେ ବିଶ୍ୱର ଫୁଟବଲ୍ ପରିଚାଳକ ସଂସ୍ଥା ଫିଫା (Fédération Internationale de Football Association - FIFA)ର ସଦସ୍ୟ ରାଷ୍ଟ୍ରମାନେ ଅଂଶ ଗ୍ରହଣ କରିଥାନ୍ତି । ୧୯୩୦ ମସିହାରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ । ୧୯୪୨ ଓ ୧୯୪୬ ମସିହାରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ଚାଲିଥିବା ଯୋଗୁଁ ଫୁଟବଲ୍ ବିଶ୍ୱକପ ଆୟୋଜିତ ହୋଇନଥିଲା । ସଦ୍ୟ ସମାପ୍ତ ହୋଇଥିବା (୨୦୧୮ ମସିହାରେ ଋଷିଆରେ ଅନୁଷ୍ଠିତ) ବିଶ୍ୱକପ ପ୍ରତିଯୋଗିତାରେ ଫ୍ରାନ୍ସ ବିଶ୍ୱବିଜେତା ଦଳ ହେବାର ଗୌରବ ଲାଭ କରିଥିଲା ।
କିଛି କହିବାର ଅଛି ୨୦୨୨ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ରୱାଲ ଓ ନମିତା ଅଗ୍ରୱାଲ । ଅନ୍ତର୍ଯ୍ୟାମି ସରଘରିଆ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ତାପସ ସରଘରିଆ । ସଙ୍ଗୀତକାର ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ୱୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲା ।
ସ୍ତୁତିଚିନ୍ତାମଣି ଭୀମ ଭୋଇଙ୍କ ରଚିତ ଏକ ଓଡ଼ିଆ ଜଣାଣ ଗ୍ରନ୍ଥ । ଏହା ଭୀମ ଭୋଇଙ୍କର ଏକ ପ୍ରମୁଖ ରଚନା ଏବଂ ମହିମା ଧର୍ମର ମୁଖ୍ୟ ଗ୍ରନ୍ଥ । ଏଥିରେ ସେ ଅଲେଖ ମହିମାଙ୍କ ବିଷୟ ବ୍ୟାଖ୍ୟାନ କରିବା ସହିତ ଅଲଖିଆମାନଙ୍କ (ସାଧକ) ପାଇଁ ତାଙ୍କର ବାଣୀ ଓ ଅନ୍ୟାନ୍ୟ ସାଧନା ଉଲ୍ଲେଖ କରିଛନ୍ତି । ସ୍ତୁତିଚିନ୍ତାମଣିରେ ଶହେରୁ ଅଧିକ ବୋଲି ରହିଛି ଓ ପ୍ରତିଟି ବୋଲି ୨୦ଟି ଭାଗରେ ବିଭକ୍ତ । ଏହି ଗ୍ରନ୍ଥରେ ମୋଟ ୪୦୦୦ ଧାଡ଼ି ୨୦୦୦ ପଙ୍କ୍ତିରେ ବିଭକ୍ତ । ଗ୍ରନ୍ଥଟି ଆତ୍ମଜୀବନୀମୂଳକ ଓ ଏଥିରେ ଭୀମଭୋଇ ନିଜର ଅନୁଭୂତି ଆଦି ଉଲ୍ଲେଖ କରିଛନ୍ତି । ଗ୍ରନ୍ଥର ଶେଷ ଆଡ଼କୁ ଅଲେଖ ମହିମାଙ୍କ ବିଷୟ ସନ୍ନିବେଶିତ ଏବଂ ମଣିଷମାନଙ୍କ ଦୁଃଖ ନାଶ ନିମନ୍ତେ ଭୀମ ଭୋଇ ତାଙ୍କ ଆଗରୁ ରଚିତ ଓ ବର୍ଣ୍ଣିତ ଶୂନ୍ଯ ନିରଞ୍ଜନଙ୍କ ବାବଦରେ ମଧ୍ୟ ବର୍ଣ୍ଣନା କରିଛନ୍ତି । ସ୍ତୁତି ଚିନ୍ତାମଣିରେ ବ୍ରହ୍ମା, ବିଷ୍ଣୁ ଓ ଶିବ ଆଦି ଦେବତାଙ୍କୁ ଅଲେଖ ମହିମାଙ୍କ ନିମ୍ନରେ ରଖାଯାଇଛି । ଏହି ମୂଳ ଗ୍ରନ୍ଥ ଭିନ୍ନ ଭିନ୍ନ ସଂକଳକ ଓ ପ୍ରକାଶକଙ୍କଦ୍ୱାରା ମୁ୍ଦ୍ରିତ ହୋଇ ପ୍ରକାଶିତ ହୋଇଛି । ଏଥି ମଧ୍ୟରୁ ୧୯୫୬-୧୯୬୬ ମସିହାରେ ଉମେଶ ସାମନ୍ତରାୟଙ୍କ ସଂକଳିତ ସମାନ ନାମରେ ପ୍ରକାଶିତ ପୁସ୍ତକ, ୧୯୮୬ ମସିହାରେ ଭୀମ ଭୋଇଙ୍କ ସାମଗ୍ରିକ ରଚନା କରୁଣାକର କରଙ୍କଦ୍ୱାରା ସଂକଳିତଭକ୍ତକବି ଭୀମଭୋଇ ଗ୍ରନ୍ଥାବଳୀ ନାମକ ପୁସ୍ତକ, ୨୦୨୦ ମସିହାରେ ସତ୍ୟନାରାୟଣ ସ୍ୱାଇଙ୍କ ଅନୂଦିତ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପ୍ରକାଶିତ ଇଂରାଜୀ ପୁସ୍ତକ Bhima Bhoi's Stutichintamani ଆଦି ଅନ୍ୟତମ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
କରଣମାନେ ମୁଖ୍ୟତଃ ଓଡ଼ିଶାରେ ବାସକରୁଥିବା ଏକ ଭାରତୀୟ ହିନ୍ଦୁ କ୍ଷତ୍ରିୟ ଜାତି । କରଣ ପଦବୀ ଏକ ବୃତ୍ତିଗତ ପଦବୀ ଥିଲା ଯାହା କଠୋର ହିନ୍ଦୁ ବର୍ଣ୍ଣ ଓ ଜାତିପ୍ରଥା ସାମାଜିକ ବିଭାଜନରେ ଉଚ୍ଚରେ ଥିବା କ୍ଷତ୍ରିୟ ଜାତିଦ୍ୱାରା ଦଖଲ କରାଯାଇଥିଲା । ସେମାନେ ଆନ୍ଧ୍ର ପ୍ରଦେଶର କେତେକ ସ୍ଥାନରେ କରଣମ ପଦବୀରେ ମଧ୍ୟ ରହିଥିଲେ ଓ ପଶ୍ଚିମବଙ୍ଗ ଏବଂ ବିହାରର କାୟସ୍ଥ ପରି ଓଡ଼ିଶାରେ ସମାନ ଭୂମିକା ଗ୍ରହଣ କରିଥିଲେ । ପାରମ୍ପାରିକ ଭାବରେ ସେମାନେ ଓଡ଼ିଆ ରାଜକୀୟ ରାଜ୍ୟଗୁଡ଼ିକର ଦରବାରରେ ସରକାରୀ ରେକର୍ଡ ରକ୍ଷକ ତଥା ଜମିଦାର, ଶିକ୍ଷକ, ରାଜା, ସୈନ୍ୟବାହିନୀରେ ମୁଖ୍ୟ ସେନାପତି ଓ ମନ୍ତ୍ରୀ ଆଦି ପଦବୀ ଅଧିକାର କରିଥିଲେ। ବର୍ତ୍ତମାନ ସମୟରେ ସେମାନେ ଏକ ରାଜନୈତିକ ପ୍ରଭାବଶାଳୀ ସମ୍ପ୍ରଦାୟ ଏବଂ ୫୦ ବର୍ଷରୁ ଉର୍ଦ୍ଧ ସମୟ ଧରି ଓଡ଼ିଶା ରାଜନୀତିରେ ନେତୃତ୍ତ୍ୱ ସ୍ଥାନ ଅଧିକାର କରିଛନ୍ତି ।
ଗୁଗଲ ନାଓ ଏକ ବୁଦ୍ଧିମାନ୍ ନିଜସ୍ୱ ସହଜ୍ୟକାରି ଆପ୍ । ଗୁଗଲ ନାଓ ସେବା ଏବେ ଗୁଗୁଲ୍ ସର୍ଚ୍ରେ ଜଡ଼ିତ ହୋଇ ରହୁଛି । ଏବଂ ଗୁଗୁଲ୍ ସର୍ଚ୍ଟି ଆନଡ୍ରଏଡ୍ ଓ ଆଇ.ଓ.ଏସ୍ରେ ଉପଲବ୍ଧ ମଧ୍ୟ ହେଉଛି । ଏହା ପରେ ମଧ୍ୟ ନିଜସ୍ୱ କମ୍ପ୍ୟୁଟରରେ ଥିବା ଗୁଗୁଲ୍ କ୍ରୋମ୍ ନାମକ ଏକ ବେବ୍ ବ୍ରାଉଜରରେ ଗୁଗଲ ନାଓର ସୁବିଧା ମିଳୁଛି । ଗୁଗଲ ନାଓ ସ୍ୱଭାବିକ ଭାଷାର ଏକ ୟୁଜର୍ ଇନ୍ଟର୍ଫେସରୁ ସାହାଯ୍ୟ ନେଉଛି । ଏବଂ ଏହି ୟୁଜର୍ ଇନ୍ଟର୍ଫେସରୁ ସାହାଯ୍ୟ ନେଇ ସେ ପ୍ରଶ୍ନର ଉତ୍ତର ଦେଉଛି, ସପାରିଶ ବା ମତ ଦଉଛି ଓ ବେବ୍ରେ ଖୋଜି ଫଳାଫଳ ଦେଖାଉଛି । ଗୁଗଲ ନାଓ ଯେ ଖାଲି ପ୍ରଷ୍ନର ଉତ୍ତର ଦେଉଛି ଏହା ନୁହେ କିନ୍ତୁ ସେ ୟୁଜର୍ର ମନପସନ୍ଦର ଜିନିସର ତାଲିକା ରଖୁଛି ଏବଂ ତାକୁ ୟୁଜର୍କୁ ଦେଖାଉଚି । ୟୁଜର୍ ଜଣକ ତାଙ୍କର ନିଜସ୍ୱ ଇନ୍ଟରେସ୍ଟ ହିସାବରେ ତାଲିକା ଗଠନ କରିପାରିବେ ଓ ଗୁଗଲ ନାଓକୁ ସେହି ବିସୟରେ ଅଧୁନାତନ କରୁଚି । ସେ ୟୁଜରଙ୍କ ଇନ୍ଟରେସ୍ଟ ଅନୁସାରେ ମଧ୍ୟ ପୁର୍ବାନୁମାନ କରିପାରୁଛି ।
ସୁଗତା କୁମାରୀ (୨୨ ଜାନୁଆରୀ ୧୯୩୪-୨୩ ଡିସେମ୍ବର ୨୦୨୦) ଜଣେ ଭାରତୀୟ କବି ତଥା କାର୍ଯ୍ୟକର୍ତ୍ତା ଥିଲେ, ଯିଏ ଦକ୍ଷିଣ ଭାରତର କେରଳରେ ପରିବେଶ ତଥା ନାରୀବାଦୀ ଆନ୍ଦୋଳନର ଅଗ୍ରଭାଗରେ ଥିଲେ । ତାଙ୍କ ପିତା କେଶଭ ପିଲ୍ଲାଇ (ବୋଧେଶ୍ୱରନ ନାମରେ ଜଣାଶୁଣା), ଜଣେ ଗାନ୍ଧୀ ଚିନ୍ତକ ତଥା ଲେଖକ ଥିଲେ , ଯିଏ ଦେଶର ସ୍ୱାଧୀନତା ସଂଗ୍ରାମରେ ଜଡ଼ିତ ଥିଲେ ଏବଂ ମାତା ଭିକେ କର୍ଥିୟାଈନୀ ଆମ୍ମା ଜଣେ ସଂସ୍କୃତ ଶିକ୍ଷକ ତଥା ଜଣାଶୁଣା ପଣ୍ଡିତ ଥିଲେ । ପ୍ରକୃତିର ସୁରକ୍ଷା ପାଇଁ ଏକ ସଂଗଠନ ଏବଂ ଅଭୟ, ଗରିବ ମହିଳାଙ୍କ ପାଇଁ ଏକ ଘର ଏବଂ ମାନସିକ ରୋଗୀଙ୍କ ପାଇଁ ଏକ ଦିନ ଯତ୍ନ କେନ୍ଦ୍ର କରିଥିଲେ । ସେ କେରଳ ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷ ଥିଲେ ।
ହାଣ୍ଡିଆ (ବଡଜ୍ହାଣ୍ଡି, ଇଲି, କୁଷ୍ନା ଓ ଡିଆଙ୍ଗ ଭାବେ ମଧ୍ୟ ପରିଚିତ) ଓଡ଼ିଶା, ବିହାର, ଝାଡ଼ଖଣ୍ଡ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ରେ ଆଦିବାସି ଜନଜାତିମାନେ ବ୍ୟବହାର କରୁଥିବା ଏକ ପ୍ରକାର ମାଦକ ପାନୀୟ । ଭାତକୁ ଏକ ସ୍ୱତନ୍ତ୍ର କିଣ୍ୱନ ପ୍ରଣାଳୀ ଦେଇ ହାଣ୍ଡିଆ ପ୍ରସ୍ତୁତ କରାଯାଇଥାଏ । ଏହା ସାଧାରଣତଃ ନିଶାଯୁକ୍ତ ଏବଂ ପେଟ ଥଣ୍ଡା ରଖିବାରେ ସାହାଯ୍ୟ କରିଥାଏ । ତତସହିତ ଏହା ଶରୀରକୁ ଶକ୍ତି ପ୍ରଦାନ କରିବାରେ ମଧ୍ୟ ସହାୟ ହେଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।