ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ନଫିସା ଅଲି (ବେଙ୍ଗାଲୀ ଉଚ୍ଚାରଣ: [ˈnafiˌsa ˈali]) ଜଣେ ଭାରତୀୟ ଅଭିନେତ୍ରୀ, ରାଜନେତ୍ରୀ, ସାମାଜିକ କର୍ମୀ ଏବଂ ପୂର୍ବତନ ମିସ୍ ଇଣ୍ଡିଆ। ସେ ‘ଇଭ୍ସ୍ ଉଇକ୍ଲି ମିସ୍ ଇଣ୍ଡିଆ’ ର ବିଜେତା ଥିଲେ ଏବଂ ‘ମିସ୍ ଇଣ୍ଟରନ୍ୟାଶନାଲ୍’ ପ୍ରତିଯୋଗିତାରେ ଭାରତକୁ ପ୍ରତିନିଧିତ୍ୱ କରି ଦ୍ୱିତୀୟ ରନର୍-ଅପ୍ ହୋଇଥିଲେ। ସେ ‘‘ଜୁନୁନ’’ ଏବଂ ‘‘ଲାଇଫ ଇନ ଏ ମେଟ୍ରୋ’’ ଭଳି ଚଳଚ୍ଚିତ୍ରରେ ଅଭିନୟ ପାଇଁ ସମାଲୋଚକମାନଙ୍କ ନିକଟରୁ ପ୍ରଶଂସା ଲାଭ କରିଥିଲେ। ସେ ଅଖିଳ ଭାରତୀୟ ତୃଣ୍ମୂଳ କଂଗ୍ରେସର ମଧ୍ୟ ଜଣେ ସଦସ୍ୟା।
ଶକ୍ତିକାନ୍ତ ଦାସ(ଜନ୍ମ : ୨୬ ଫେବୃଆରୀ ୧୯୫୭) ଜଣେ ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଅଟନ୍ତି । ୨୦୧୮ ଡିସେମ୍ବର ୧୧ତାରିଖରେ ସେ ଭାରତର ୨୫ତମ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ନିଯୁକ୍ତ ହୋଇଥିଲେ ଓ ଏହି ପଦବୀରେ ୨୦୨୪ ମସିହା ଡିସେମ୍ବର ୧୦ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଏହି ପଦ ହାସଲ କରିବାରେ ଶକ୍ତିକାନ୍ତ ପ୍ରଥମ ଓଡ଼ିଆ ଥିଲେ । ୨୦୨୫ ମସିହା ଫେବୃଆରି ମାସରେ ଶକ୍ତିକାନ୍ତଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବରେ ନିଯୁକ୍ତ କରାଯାଇଥିଲା ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମାନସିକ କଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ଭାରତୀୟ ଜନତା ପାର୍ଟି (ବିଜେପି) ଭାରତର ଶାସକ ରାଜନୈତିକ ଦଳ । ଏହା ଭାରତୀୟ ଜାତୀୟ କଂଗ୍ରେସ ସହିତ ଭାରତର ଦୁଇଟି ପ୍ରମୁଖ ରାଜନୈତିକ ଦଳ ମଧ୍ୟରୁ ଅନ୍ୟତମ । ୨୦୧୯ ସୁଦ୍ଧା ଏହା ଜାତୀୟ ସଂସଦ ତଥା ରାଜ୍ୟସଭାରେ ପ୍ରତିନିଧିତ୍ୱ ଦୃଷ୍ଟିରୁ ଦେଶର ସର୍ବବୃହତ ରାଜନୈତିକ ଦଳ ଏବଂ ପ୍ରାଥମିକ ସଦସ୍ୟତା ଦୃଷ୍ଟିରୁ ଏହା ବିଶ୍ୱର ସର୍ବବୃହତ ଦଳ । ବିଜେପି ଏକ ଦକ୍ଷିଣପନ୍ଥୀ ଦଳ ଏବଂ ଏହାର ନୀତି ଐତିହାସିକ ଭାବରେ ହିନ୍ଦୁ ଜାତୀୟତାବାଦୀ ସ୍ଥିତିକୁ ପ୍ରତିଫଳିତ କରିଛି । ଏହାଠାରୁ ବେଶୀ ପୁରୁଣା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ (ଆରଏସଏସ) ସହିତ ଏହାର ଘନିଷ୍ଠ ଆଦର୍ଶ ଏବଂ ସାଂଗଠନିକ ସମ୍ବନ୍ଧ ରହିଛି ।
ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।
ବ୍ରାହ୍ମଣୀ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ । ଶଙ୍ଖ ଓ କୋଏଲ ନାମକ ଦୁଇଟି ନଦୀ ଝାଡ଼ଖଣ୍ଡ ରାଜ୍ୟର ଛୋଟନାଗପୁର ମାଳଭୂମିରୁ ଉତ୍ପନ୍ନ । ଏହି ଦୁଇନଦୀ ସୁନ୍ଦରଗଡ଼ ଜିଲ୍ଲାରେ ରାଉରକେଲା ସହର ନିକଟବର୍ତ୍ତୀ ପାନପୋଷଠାରେ ମିଳିତ ହୋଇ ଗୋଟିଏ ନଦୀ ହୋଇଛନ୍ତି । ଏହାର ନାମ ବ୍ରାହ୍ମଣୀ । ଏହା କଟକ ଜିଲ୍ଲାରେ ଯାଜପୁର ଅଞ୍ଚଳର ବୈତରଣୀ ନଦୀ ସହିତ ମିଶି ବଙ୍ଗୋପସାଗରରେ ପଡ଼ିଅଛି । ରାଉରକେଲା, ବଣେଇଗଡ଼, ଭୁବନ, ତାଳଚେର, ଜେନାପୁର, ବିଞ୍ଝାରପୁର, ଡେରାବିଶ ଓ ପଟ୍ଟାମୁଣ୍ଡାଇ ଏହି ନଦୀର କୂଳରେ ଅବସ୍ଥିତ । ବ୍ରାହ୍ମଣୀ ନଦୀରେ ବେଶୀ ବନ୍ୟା ହେଲେ ଯାଜପୁର ଅଞ୍ଚଳର କ୍ଷତି ହୁଏ ।
ମୁଖପକ୍ଷାଘାତ (ଇଂରାଜୀ ଭାଷାରେ ବେଲ୍ସ ପାଲ୍ସି/Bell's palsy) ଏକ ମୁଖସ୍ନାୟୁ ପକ୍ଷାଘାତ (facial paralysis) ରୋଗ ଯାହା ଫଳରେ ରୋଗୀ ନିଜର ମୁଖମଣ୍ଡଳର ମାଂସପେଶୀମାନଙ୍କୁ ନିୟନ୍ତ୍ରଣ କରିବାକୁ ଅକ୍ଷମ ହୁଏ । ଏହାର ଲକ୍ଷଣ ସାମାନ୍ୟରୁ ସାଂଘାତିକ ହୋଇପାରେ । ଏହି ଲକ୍ଷଣ ମଧ୍ୟରେ ମାଂସପେଶୀ ସ୍ଫୁରଣ (twitch), ଦୁର୍ବଳ ଓ ଗୋଟିଏ ପାଖ ବା ଉଭୟ ପାଖ ଚଳନ କରିବାକୁ ଅକ୍ଷମ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଆଖିପତା ଝୁଲିପଡ଼େ (drooping of the eyelid), ସ୍ୱାଦ ପରିବର୍ତ୍ତିତ ହୁଏ, କାନ ଚାରିପାଖରେ ଯନ୍ତ୍ରଣା ହୁଏ ଓ ଅଧିକ ଜୋରରେ ଶବ୍ଦ ଶୁଣାଯାଇପାରେ । ସ୍ୱାଭାବିକ ଭାବରେ ଏହାର ଲକ୍ଷଣ ୪୮ଘଣ୍ଟାରେ ପ୍ରକାଶ ପାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ମଙ୍ଗଳା କିଶାନ (ଜନ୍ମ: ୬ ଜୁନ ୧୯୪୭) ଜଣେ ଭାରତୀୟ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର ଜଣେ ପ୍ରତିନିଧି ଭାବରେ ଓଡ଼ିଶା ବିଧାନ ସଭା ଏବଂ ରାଜ୍ୟ ସଭାରେ ସଦସ୍ୟ ଭାବରେ କାର୍ଯ୍ୟ କରିଛନ୍ତି । ମଙ୍ଗଳା କିଶାନ ୦୩ ଅପ୍ରେଲ ୨୦୦୮ରେ ଓଡ଼ିଶାରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୦୨ ଅପ୍ରେଲ ୨୦୧୪ ଯାଏଁ ୬ବର୍ଷ ଧରି ସେଠାରେ କାର୍ଯ୍ୟ କରିଥିଲେ । ସେ ରାଜଗାଙ୍ଗପୁର ବିଧାନ ସଭା ମଣ୍ଡଳୀରୁ ଓଡ଼ିଶାର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ରାଜ୍ୟ ସଭା ସାଂସଦ ଥିବାବେଳେ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଦାବି ଉପସ୍ଥାପନ କରିଥିଲେ, ତାଙ୍କ ସହ ଆଉ ୧୩ ଜଣ ସାଂସଦ ମଧ୍ୟ ଏହି ଉଦ୍ୟମରେ ଥିଲେ ।
କପିଳେନ୍ଦ୍ର ଦେବ (୧୪୩୫–୧୪୬୫, ଜନ୍ମ: କପିଳେନ୍ଦ୍ର ରାଉତ) ଜଣେ ଉତ୍କଳୀୟ ସମ୍ରାଟ ଥିଲେ । ତାଙ୍କ ସମୟରେ ଉତ୍କଳର ସୀମା ଉତ୍ତରରେ ଗଙ୍ଗା ନଦୀଠାରୁ ଦକ୍ଷିଣରେ କାବେରୀ ନଦୀ ପର୍ଯ୍ୟନ୍ତ ବିସ୍ତୃତ ଥିଲା ।ଯାଏଁ ଅଞ୍ଚଳ ଅଧୀକାର କରି "ଗଜପତି ଗୌଡେଶ୍ବର ନବକୋଟି କର୍ଣ୍ଣାଟ କଳବର୍ଗେଶ୍ୱର ଉପାଧୀ" ପାଇଥିଲେ । ସେ ସୂର୍ଯ୍ୟ ବଂଶର ପ୍ରତିଷ୍ଠାତା ତଥା ପ୍ରଥମ ନରପତି ଥିଲେ । "ଗୌଡ଼େଶ୍ବର"ର ଅର୍ଥ ଗୌଡ଼ ଅର୍ଥାତ୍ ବଙ୍ଗର ଅଧୀଶ୍ବର ଏବଂ "ନବକୋଟି କର୍ଣାଟ କଳବର୍ଗେଶ୍ୱର"ର ଅର୍ଥ କର୍ଣ୍ଣାଟ (ବିଜୟନଗର ସାମ୍ରାଜ୍ଯ) ଏବଂ କଳବର୍ଗ (ବାହମନୀ ସାମ୍ରାଜ୍ୟର ପୂର୍ବତନ ରାଜଧାନୀ ନାମ ଥିଲା ଗୁଲବର୍ଗା)ର ନଅକୋଟି ଅଧିବାସୀଙ୍କର ପ୍ରଭୁ । ସେ ନିଜକୁ ଜଗନ୍ନାଥଙ୍କ ପରମ ସେବକ ମଣୁଥିଲେ ଓ ଗଜପତି ଉପାଧିରେ ଭୂଷିତ କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବାଗାଲ ବା ବଗାଳ (ଇଂରାଜୀରେ Bāgāl, ହିନ୍ଦୀରେ बागाल, ବଙ୍ଗଳାରେ বাগাল) ପୂର୍ବ ଭାରତର ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଓ ଓଡ଼ିିଶା ରାଜ୍ୟରେ ବସବାସ କରୁଥିବା ଏକ ଗାଈଗୋରୁ ଚରାଳି ଜାତି। କୁଡୁମାଲି ହେଉଛି ସେମାନଙ୍କର ମାତୃଭାଷା (ଆଞ୍ଚଳିକ ଭାବେ ବାଗାଲ୍ ଭାଷାରେ ଜଣାଶୁଣା) କିନ୍ତୁ ହିନ୍ଦୀ, ବଙ୍ଗଳା ଓ ଓଡ଼ିଆ ଭାଷାକୁ ମଧ୍ୟ ସେମାନେ ଦ୍ୱିତୀୟ ଭାଷା ରୂପେ ବ୍ୟବହାର କରନ୍ତି।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ମୋହିନୀ (ଇଂରାଜୀ ଭାଷାରେ Mohini), (Sanskrit: मोहिनी, Mohinī) ବିଷୟ ହିନ୍ଦୁ ପୁରାଣରେ ବର୍ଣ୍ଣନା କରାଯାଇଛି ଓ ଏହା ବିଷ୍ଣୁଙ୍କର ଏକ ମହିଳା ଅବତାର ବୋଲି କୁହାଯାଏ । ତାଙ୍କୁ ଜଣେ ମାୟାବିନୀ ବା କୁହୁକିନୀ ଭାବରେ ଚିତ୍ରଣ କରାଯାଇଛି ଯିଏ ବ୍ୟକ୍ତିମାନଙ୍କୁ ପ୍ରେମରେ ପାଗଳ କରି ବିନାଶ କରିପାରନ୍ତି । ହିନ୍ଦୁ ପୁରାଣ ମହାଭାରତରେ ମୋହିନୀ ବିଷୟର ଅବତାରଣା କରାଯାଇଛି । ବିଷ୍ଣୁ ଏକ ମହିଳା ରୂପ ଧାରଣ କରି ଅସୁରଙ୍କ ହାତରର ଅମୃତ (Amrita) ଭରା ପାତ୍ର ଛଡ଼େଇ ଆଣି ଦେବତାଙ୍କୁ ଦେଇଥିଲେ ଓ ଏହା ଫଳରେ ଦେବତାମାନେ ତାଙ୍କର ଅମରତ୍ୱ ବଜାୟ ରଖିପାରିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସ୍ୱତନ୍ତ୍ର ବିବାହ ଅଧିନିୟମ, ୧୯୫୪ ହେଉଛି ଜାତି, ଧର୍ମ ଏବଂ ବର୍ଣ୍ଣ ନିର୍ବିଶେଷରେ ଦୁଇ ପକ୍ଷ ମଧ୍ୟରେ ବିବାହ ତଥା ବିବାହ ସମ୍ପର୍କିତ ବିବାଦର ସୁପରିଚାଳନା ନିମିତ୍ତ ୧୯୫୪ ମସିହାରେ ଭାରତୀୟ ପାର୍ଲିଆମେଣ୍ଟଦ୍ୱାରା ପ୍ରଣୀତ ଏକ ଅଧିନିୟମ । ବସ୍ତୁତଃ ବ୍ରିଟିଶ ଶାସନ କାଳରେ, Act-III of 1872ରେ ଏଭଳି ଏକ ଅଧିନିୟମର ଜାରି କରାଯାଇଥିଲା । ତେବେ ପରବର୍ତ୍ତୀ ସମୟରେ ଏହାର ସଂଶୋଥିତ ରୂପରେ ସ୍ୱତନ୍ତ୍ର ବିବାହ ଅଧିନିୟମ, ୧୯୫୪ ଭାରତୀୟ ପାର୍ଲିଆମେଣ୍ଟଦ୍ୱାରା ୧୯୫୪ ମସିହାରେ ଗୃହିତ ହୋଇଥିଲା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ନବଜାତ ନେତ୍ରାବରଣ ପ୍ରଦାହ କୁହାଯାଏ (ଇଂରାଜୀ ଭାଷାରେ Neonatal conjunctivitis) ଯେତେବେଳେ ଜୀବନର ପ୍ରଥମ ୨୮ ଦିନରେ ଆଖିର ବାହ୍ୟ ଅଂଶର ପ୍ରଦାହ ହୁଏ । ଲକ୍ଷଣଗୁଡ଼ିକ ହେଉଛି ଆଖିପତା ଫୁଲିଯିବା, ଦରଜ ହେବା, ଆଖିରୁ ଲାଲପଣ ଏବଂ ପାଣି ନିଷ୍କାସନ ହେବା । । ନିଷ୍କାସିତ ଜଳ ପାଣିଯୁକ୍ତ କିମ୍ବା ହଳଦିଆ ହୋଇପାରେ । ଚିକିତ୍ସା ବିନା ଜଟିଳ ହୋଇ ଅନ୍ଧତ୍ୱ ହୋଇପାରେ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଦେବାଦେବୀଙ୍କ ମନ୍ଦିରର ନୃତ୍ୟାଙ୍ଗନାମାନଙ୍କୁ ଦେବଦାସୀ କୁହାଯାଏ । ରାଜସଭାର ରାଜ ନର୍ତ୍ତକୀମାନଙ୍କ ଅନୁକରଣରେ ବିଭିନ୍ନ ମନ୍ଦିରରେ ଦେବଦାସୀ ପ୍ରଥାର ପ୍ରଚଳନ। ମର୍ତ୍ତ୍ୟରେ ଦେବତାମାନଙ୍କ ପ୍ରତି ଏମାନଙ୍କ ନୃତ୍ୟ ଓ ଜୀବନଶୈଳୀ ଉତ୍ସର୍ଗ । ଏହି ପୁରାତନ ପ୍ରଥା ରାଜ୍ୟ, ଦେଶ ଓ ବିଶ୍ୱର ବହୁମନ୍ଦିରରେ ପ୍ରଚଳିତ ଥିଲା । ପରବର୍ତ୍ତୀ ସମୟରେ ଏହି ଦିବ୍ୟାନୁଭୂତି ସମର୍ପିତ କଳା ଲୁପ୍ତପ୍ରାୟ ହେବାକୁ ବସିଲାଣି ।
ଦାମୋଦର ନଦୀ (Pron:/ˈdæmoˌdaː/)ଭାରତୀୟ ରାଜ୍ୟ ପଶ୍ଚିମ ବଙ୍ଗ ଓ ଝାଡ଼ଖଣ୍ଡ ଦେଇ ପ୍ରବାହିତ ହଉଥିବା ଏକ ମୁଖ୍ୟ ନଦୀ । ଏହି ନଦୀ ଉପତ୍ୟକା ଅଞ୍ଚଳ ଖଣିଜ ସମ୍ପଦରେ ପରିପୂର୍ଣ ଓ ଏହାର ତଟବର୍ତୀଇଲାକାରେ ବହୁଳ ପରିମାଣରେ ଖଣି ଓ ସମ୍ପର୍କିତ ଶିଳ୍ପରେ ପରିପୂର୍ଣ । ଏହା ପ୍ରଥମେ " ପଶ୍ଚିମ ବଙ୍ଗର ଦୁଖ " ନାମରେ କୁହାଯାଇଥାଇ ପ୍ରତିବର୍ଷ ବନ୍ୟା ବଙ୍ଗୀୟ ସମତଳ ଅଞ୍ଚଳରେ ବିପତ୍ତି ସୃଷ୍ଟି କରୁଥିଲା । ତେବେ ବର୍ତ୍ତମାନ ଦାମୋଦର ଓ ତାହାର ଶାଖା ନଦୀ ସମୂହରେ ଅନେକ ବନ୍ଧ ନିର୍ମାଣ କରାଯାଇ ଜଳଭଣ୍ଡାରରେ ଜଳ ସଂଗ୍ରହ କରାଯିବାରୁ ବନ୍ୟା ବିପତ୍ତି ଅନେକ ପରିମାଣରେ ରୋକା ଯାଇ ପାରିଛି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
'ଭଦ୍ରକାଳୀ'Bhadrakāli (Tamil: பத்ரகாளி, ତେଲୁଗୁ: భద్రకాళి, ମାଲୟାଲମ: ഭദ്രകാളി, ସଂସ୍କୃତ: भद्रकाली), ହେଉଛନ୍ତି ଦେବୀ ମାହାତ୍ମ୍ୟରେ ବର୍ଣ୍ଣିତ ଜଣେ ମହା (ଦେବୀ). ସଂସ୍କୃତରେ ଭଦ୍ର ଶବ୍ଦର ଅର୍ଥ ହେଲା "କୃପାପ୍ରାପ୍ତ", "ଶୁଭ", "ଗୌର", "ସୁନ୍ଦର", "ଉତ୍ତମ", "ଭଗ୍ୟଶାଳୀ", "ସମୃଦ୍ଧିଶାଳୀ". ଭଦ୍ରକ ସହର ଉପକଣ୍ଠରେ ଏହି ଦେବୀଙ୍କର ମନ୍ଦିର ଅବସ୍ଥିତ। ଏହି ଦେବୀଙ୍କ ନାମ ଅନୁସାରେ ସହରର ନାମ ଭଦ୍ରକ ହୋଇଛି ବୋଲି ଜନଶ୍ରୁତି ରହିଛି। ଏହି ଦେବୀ ମଧ୍ୟ କେରଳରେ ପୂଜା ପାଉଥିବା ଲୋକପ୍ରିୟ ଦେବୀମାନଙ୍କ ଭିତରୁ ଅନ୍ୟତମ। କେରଳରେ ତାଙ୍କୁ କାଳୀଙ୍କର ଶୁଭ ଓ ସୌଭାଗ୍ୟପ୍ରଦାୟିନୀ ପ୍ରତୀକାତ୍ମକ ରୂପ ଭାବେ ପରିଗଣିତ କରାଯାଏ। ଏହା ଛଡ଼ା ସମଗ୍ର ଭାରତରେ ଭଦ୍ରକାଳୀଙ୍କ ଉପାସନାର ପ୍ରମାଣ ମିଳିଥାଏ। ସାଧାରଣତଃ ଭଦ୍ରକଳୀଙ୍କୁ ରୁଦ୍ରଙ୍କର ସହଚରୀ ବୋଲି କୁହାଯାଏ। କେତେ ଜାଗାରେ ତାଙ୍କୁ ବୀରଭଦ୍ରଙ୍କ ସହଚରୀ ବୋଲି କୁହାଯାଏ, ଯିଏ ରୁଦ୍ରଙ୍କ କ୍ରୋଧରୁ ଜାତ ହୋଇଛନ୍ତି। .
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଫାତିମା ତାସନିମ ସାଦିୟା (ଜନ୍ମ: ୧୭ ମାର୍ଚ୍ଚ ୧୯୯୯) ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ ଓ ମଡେଲ୍ । ସେ ମୁଖ୍ୟତଃ ସାଦିୟା ଆୟମାନ ନାମରେ ପରିଚିତା । ସେ ବଙ୍ଗଳାଦେଶୀ କଥାଚିତ ଓ ଟେଲିଭିଜନ ଧାରାବାହିକରେ କାମ କରନ୍ତି । ୨୦୧୯ ମସିହାରେ, ସେ ଟେଲିଭିଜନ ଡ୍ରାମା ଟୁ ବି ୱାଇଫ୍ ଜରିଆରେ ଅଭିନୟ କରିବା ଆରମ୍ଭ କରିଥିଲେ । ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ୱେବ୍ ସିରିଜ୍ ମାୟାଶାଲିକ ପାଇଁ ବିସିଆର୍ଏ ଆୱାର୍ଡ଼ସ୍ରେ ଶ୍ରେଷ୍ଠ ନବାଗତା ପୁରସ୍କାର ପାଇଥିଲେ । ୨୦୨୪ ମସିହାରେ, ଗିଆସ-ଉଦ୍ଦିନ ସେଲିମଙ୍କ ନିର୍ଦ୍ଦେଶିତ କାଜୋଲରେଖା ଜରିଆରେ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ କାମ କରିବା ଆରମ୍ଭ କରିଥିଲେ ।
ଚାଖି ଖୁଣ୍ଟିଆ (ଅନ୍ୟ ନାମ: ଚନ୍ଦନ ହଜୁରୀ, ୧୮୨୭ - ୧୮୭୦) ଓଡ଼ିଶାର ଜନ୍ମିତ ଓ ସିପାହୀ ବିଦ୍ରୋହରେ ନେତୃତ୍ତ୍ୱ ନେଇଥିବା ଜଣେ ଯୋଦ୍ଧା । ସେ ପୁରୀ ଜଗନ୍ନାଥ ମନ୍ଦିରକୁ ଆସୁଥିବା ନେପାଳୀ ଭକ୍ତମାନଙ୍କର ପଣ୍ଡା ଥିଲେ । ୧୮୫୭ ମସିହାରେ ସିପାହୀ ବିଦ୍ରୋହ ବେଳେ ସେ ଉତ୍ତର-ପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରିଥିଲେ । ପରେ ସେ ଧରାପଡ଼ି ବ୍ରିଟିଶମାନଙ୍କଦ୍ୱାରା ନିହତ ହୋଇଥିଲେ ।
ମେଘଦୂତ ରାଧାନାଥ ରାୟଙ୍କ ରଚିତ ଏକ ଦୀର୍ଘ କବିତା ଅଟେ । ଏହା "ଜନ୍ ବିମ୍ସ୍ ଏସ୍କ୍ୱେର"(John Beames Esquire)ଙ୍କୁ ଉତ୍ସର୍ଗ କରାଯାଇଛି । ସଂପୂର୍ଣ୍ଣ କାବ୍ୟଟି ଦୁଇ ଭାଗରେ ବିଭକ୍ତ ଯଥା: 'ପୂର୍ବ-ମେଘ' ଓ 'ଉତ୍ତର-ମେଘ' । ଉଭୟ ଭାଗରେ କଳହଂସ କେଦାର ରାଗ ବ୍ୟବହାର ହୋଇଛି । ପୂର୍ବ ମେଘ ସଂପୂର୍ଣ୍ଣ ୫୬୪ଟି ଧାଡି ବିଶିଷ୍ଟ ଓ ଉତ୍ତରମେଘ ୪୬୮ଟି ଧାଡି ବିଶିଷ୍ଟ ଅଟେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସିରୋସିସ୍ ଏକ ପ୍ରକାର ରୋଗ ଯେଉଁଥିରେ ଦୀର୍ଘକାଳୀନ କ୍ଷତି ଯୋଗୁ ଯକୃତ ଭଲ ରୂପେ କାର୍ଯ୍ୟ କରିପାରେ ନାହିଁ । ସ୍ୱାଭାବିକ ଭାବରେ ରୋଗ ବର୍ଷ ବର୍ଷ ଧରି ଧୀରେ ବଢ଼ିଚାଲେ । ରୋଗ ଆରମ୍ଭରେ କୋଣସି ଲକ୍ଷଣ ପ୍ରକାଶ ପାଏନାହିଁ । ରୋଗ ଖରାପ ଦିଗକୁ ଗତି କଲେ ଦୁର୍ବଳ ଲାଗେ, ଗଲୁ କରେ, ଗୋଡ଼ ନିମ୍ନଭାଗ ଫୁଲିଯାଏ, ଚମ ହଳଦିଆ ହୁଏ, ସହଜରେ କ୍ଷତ ହୁଏ, ପେଟରେ ତରଳ ପଦାର୍ଥ ଜମିଯାଏ ଓ ପେଟ ବୁଢ଼ିଆଣି ବସା ପରି ଶିରାଳ ଦେଖାଯାଏ । ପେଟରେ ଜମିଥିବା ତରଳ ପଦାର୍ଥ ସ୍ୱତଃ ସଂକ୍ରମିତ ହୋଇଯାଇପାରେ । ଅନ୍ୟ ଜଟିଳତା ମଧ୍ୟରେ ହେପାଟିକ ଏନକେଫାଲୋପାଥି, ଏସୋଫେଗସରେ ଥିବା ସ୍ଫିତ ରକ୍ତନଳୀରୁ ରକ୍ତସ୍ରାବ ଓ କର୍କଟ ରୋଗ ହୋଇପାରେ । ହେପାଟିକ ଏନକେଫାଲୋପାଥି ହେଲେ ମାନସିକ ଦ୍ୱନ୍ଦ ହୁଏ ଓ ମୂର୍ଚ୍ଛା ହେବା ସମ୍ଭାବନା ରହେ ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ସରସ୍ୱତୀ ପ୍ରଧାନ (୩୦ ମଇ ୧୯୨୫ – ୧ ନଭେମ୍ବର ୨୦୨୩) ଜଣେ ଓଡ଼ିଆ ରାଜନୀତିଜ୍ଞା । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଟଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ୧୯୭୨ ମସିହାରୁ ୧୯୭୮ ମସିହା ପର୍ଯ୍ୟନ୍ତ ରାଜ୍ୟ ସଭାର ସାଂସଦ ଭାବରେ କାର୍ଯ୍ୟ କରିଥିଲେ । ସେ ଲିଙ୍ଗଗତ ସମାନତା ପାଇଁ କାର୍ଯ୍ୟ କରୁଥିଲେ ।
ସ୍ନିଗ୍ଧା ମହାନ୍ତି ଜଣେ ଜଣାଶୁଣା ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଅନେକ ଓଡ଼ିଆ ଓ ବଙ୍ଗଳା ସିନେମାରେ କାମ କରିଛନ୍ତି । ୧୯୮୮ ଜାନୁଆରୀରେ ମୁକ୍ତିଲାଭ କରିଥିଲା ଚଳଚ୍ଚିତ୍ର ଲାଲ୍ପାନ ବିବି ନବାଗତା ଅଭିନେତ୍ରୀଭାବେ ମହାନ୍ତି ଅଭିନୟ ଆରମ୍ଭ କରିଥିଲେ । ସେ ନାୟିକା, ସହ-ନାୟିକା, ନକାରାତ୍ମକ ଭୂମିକାରେ ଏବଂ ଦୂରଦର୍ଶନ ଧାରାବାହିକମାନଙ୍କରେ ପ୍ରମୁଖ ଭୂମିକାରେ ମଧ୍ୟ ଅଭିନେତ୍ରୀ ଭାବେ ଅଭିନୟ କରିଛନ୍ତି । ସେ ପଚାଶରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି । ତରଙ୍ଗ ଟିଭିରେ ପ୍ରସାରିତ "ସ୍ୱାଭିମାନ" ଓ "ଅମ୍ବିକାଖୁଡ଼ୀଙ୍କ ହାଣ୍ଡିଶାଳ" ତାଙ୍କ ଅଭିନୀତ ଦୁଇଟି ଲୋକପ୍ରିୟ ଧାରାବାହିକ କାର୍ଯ୍ୟକ୍ରମ । ସେ ଭାରତୀୟ ଡାକ ବିଭାଗରେ କାର୍ଯ୍ୟ କରନ୍ତି ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ ।