ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗ୍ଲକୋମା ଏକ ଚକ୍ଷୁ ଦଳୀୟ ରୋଗର ନାମ ଯାହା ଦୃଷ୍ଟି ସ୍ନାୟୁ ନଷ୍ଟ ହେବା ଯୋଗୁ ହୁଏ ଓ ଦୃଷ୍ଟି ହାନୀ ହୁଏ । ଏଥି ମଧ୍ୟରୁ ଓପନ୍ ଆଙ୍ଗ୍ଲ ଗ୍ଲକୋମା ଅଧିକ ଦେଖାଯାଏ ଓ ତାହାଠାରୁ କମ୍ କ୍ଲୋଜ୍ଡ୍ ଆଙ୍ଗ୍ଲ ଗ୍ଲକୋମା ଓ ନର୍ମାଲ ଟେନ୍ସନ୍ ଗ୍ଲକୋମା ରୋଗ ଦେଖାଯାଏ । ଓପନ୍ ଆଙ୍ଗ୍ଲ ଗ୍ଲକୋମା ସମୟ କ୍ରମେ ଧୀରେ ଧୀରେ ବଢ଼େ ଓ ଯନ୍ତ୍ରଣା ହୁଏ ନାହିଁ । ପ୍ରଥମେ ପାର୍ଶ୍ୱ ଦୃଷ୍ଟି ହାନୀ ହୁଏ ଓ ପରେ କେନ୍ଦ୍ରୀୟ ଦୃଷ୍ଟି ହାନୀ ହୋଇ ଅନ୍ଧତ୍ୱ ହୁଏ । କ୍ଲୋଜ୍ଡ୍ ଆଙ୍ଗ୍ଲ ଗ୍ଲକୋମା ଧୀରେ ବା ହଠାତ୍ ହୋଇପାରେ । ହଠାତ୍ ଆରମ୍ଭ ହେଲେ ସାଂଘାତିକ ଚକ୍ଷୁ ଯନ୍ତ୍ରଣା ହୁଏ, ଅସ୍ପଷ୍ଟ ଦୃଷ୍ଟି, ମଧ୍ୟମ-ସ୍ଫୀତ ପୁତ୍ତଳୀ, ଲାଲ ଆଖି ଓ ଅଇ ହୁଏ । ଏହି ରୋଗ ଯୋଗୁ ଦୃଷ୍ଟ ହାନୀ ହେଲେ ସ୍ଥାୟି ହୋଇଯାଏ ।
ଶରତ କୁମାର ଦେବ (୨୬ ଅକ୍ଟୋବର ୧୯୪୪ - ୨୪ ମାର୍ଚ୍ଚ ୨୯୮୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟି ଏବଂ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଶରତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର ଥର ଏବଂ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧, ୧୯୭୪, ୧୯୭୭ ଓ ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଆଳି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୬ଷ୍ଠ, ୭ମ ଓ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୪ ମସିହାରେ କେନ୍ଦ୍ରାପଡ଼ା ଉପ-ନିର୍ବାଚନରେ ସେ ୮ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
ବିଜୟ ଦାବ୍ବେ (୧ ଜୁନ୍ ୧୯୫୧ - ୨୩ ଫେବୃଆରୀ ୨୦୧୮) ଜଣେ ଭାରତୀୟ ଲେଖକ, ନାରୀବାଦୀ, ପଣ୍ଡିତ ତଥା କନ୍ନଡ ଭାଷାରେ ସମାଲୋଚକ ଥିଲେ । ସେ ଆଧୁନିକ କନ୍ନଡ ଭାଷାରେ ପ୍ରଥମ ନାରୀବାଦୀ ଲେଖକ ଭାବରେ ମାନ୍ୟତା ପାଇବା ସହିତ କର୍ଣ୍ଣାଟକର ନାରୀବାଦୀ ଆନ୍ଦୋଳନର ଜଣେ ପ୍ରମୁଖ ବ୍ୟକ୍ତି ଥିଲେ । ସେ ଆଧୁନିକ କନ୍ନଡ଼ର ପ୍ରଥମ ପିଢି ମହିଳା ଲେଖକମାନଙ୍କ ଉପରେ ବିସ୍ତୃତ ଗବେଷଣା କରିଥିଲେ ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ପ୍ଲେଗ (ଇଂରାଜୀ ଭାଷାରେ Plague) ଏକ ସଂକ୍ରାମକ (infectious disease) ରୋଗ ଯାହା ୟେରସିନିଆ ପେସ୍ଟିସ (Yersinia pestis) ନାମକ ଏକ ଜୀବାଣୁଦ୍ୱାରା (bacterium) ହୁଏ । ଏହି ରୋଗରେ ଜ୍ୱର, ମୁଣ୍ଡ ବିନ୍ଧା ହୁଏ ଓ ଦୁର୍ବଳ ଲାଗେ । ଜୀବାଣୁ ସଂସ୍ପର୍ଶରେ ଆସିବାର ସଂସ୍ପର୍ଶର ୧-୭ ଦିନ ପରେ ରୋଗ ଆରମ୍ଭ ହୁଏ । ବୁବୋନିକ ପ୍ଲେଗରେ (Bubonic plague) ଲସିକା ଗ୍ରନ୍ଥି ଫୁଲିଯାଏ, ସେପ୍ଟିସେମିକ ପ୍ଲେଗରେ (septicemic plague) ତନ୍ତୁମାନଙ୍କ ମୃତ୍ୟୁ ହୋଇ କଳା ପଡ଼ିଯାଏ ଓ ନିମୋନିକ ପ୍ଲେଗରେ (pneumonic plague) ଛାତି ଯନ୍ତ୍ରଣା, କାଶ ହେବା ସହିତ ରୋଗୀକୁ ଅଣନିଶ୍ୱାସୀ ଲାଗେ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାଇଜେନ୍ (ଈଂରାଜୀରେ Kaizen ଓ ନିହୋଂଗୋ ବା ଜାପାନୀ ଭାଷାରେ 改善) ମୂଳତଃ ଏକ ଜାପାନୀ ଶବ୍ଦ ଯାହାର ଅର୍ଥ ହେଲା ସମୁନ୍ନତି ବା ସଂସ୍କାର (ଈଂରାଜୀରେ Improvement) । ବ୍ୟବସାୟ ତଥା ଉଦ୍ୟୋଗ କ୍ଷେତ୍ରରେ କାଇଜେନ୍ ପଦ୍ଧତି ଅବଲମ୍ବନ କରିବାର ଅର୍ଥ ହେଲା : ଦୈନନ୍ଦିନ ଔଦ୍ୟୋଗିକ ପ୍ରକ୍ରିୟାରେ ସଂସ୍କାର ଆଣିବା ଯାହାଦ୍ୱାରା କମ୍ପାନୀର ସମସ୍ତ ବିଭାଗ ସୁଚାରୁ ରୂପେ କାର୍ଯ୍ୟ ତୁଲାଇବେ । ଶ୍ରମିକଠାରୁ ନେଇ କମ୍ପାନୀର ଅଧ୍ୟକ୍ଷ ପର୍ଯ୍ୟନ୍ତ କମ୍ପାନୀର ସମସ୍ତ କର୍ମଚାରୀ କାଇଜେନ୍ ପଦ୍ଧତିରେ ଭାଗୀଦାର । କାଇଜେନ୍ ପଦ୍ଧତି କଞ୍ଚାମାଲ କ୍ରୟ, ନିର୍ମିତ ବସ୍ତୁଙ୍କ ବିକ୍ରୟ, ବିତରଣ ଓ ବଣ୍ଟନ ଇତ୍ୟାଦି ସମସ୍ତ ପ୍ରକାରର ଔଦ୍ୟୋଗିକ ପ୍ରଣାଳୀ ପାଇଁ ପ୍ରଯୁଜ୍ୟ ।
ମାନବିକ ଅଧିକାର ସମ୍ପର୍କରେ ବିଶ୍ୱଜନୀନ ଘୋଷଣା
ମାନବିକ ଅଧିକାର ସମ୍ପର୍କରେ ବିଶ୍ୱଜନୀନ ଘୋଷଣା ବା ୟୁଡିଏଚଆର (ଇଂରାଜୀ: Universal Declaration of Human Rights (UDHR)) ଏକ ଐତିହାସିକ ଦଲିଲ ଏବଂ ଏହା ୧୯୪୮ ଡିସେମ୍ବର ୧୦ରେ ପ୍ୟାରିସସ୍ଥିତ ମିଳିତ ଜାତିସଂଘ ସାଧାରଣ ସଭାର ୨୧୭ତମ ସଂକଳ୍ପ ଧାରା ଅନୁସାରେ ତୃତୀୟ ଅଧିବେଶନରେ ବହୁମତରେ ଗୃହୀତ ହୋଇଥିଲା । ଜାତିସଂଘର ୫୮ ସଦସ୍ୟଙ୍କ ମଧ୍ୟରୁ ୪୮ ଜଣ ସଦସ୍ୟ ଏହାକୁ ସମର୍ଥନ କରିଥିବା ବେଳେ ୮ ଜଣ ଅନୁପସ୍ଥିତ ଥିଲେ ଓ ଦୁଇ ଜଣ ଭୋଟ ଦେବାରୁ ବିରତ ଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କୁମ୍ଭେଶ୍ୱର ମନ୍ଦିର (ନେପାଳୀ: कुम्भेश्वर मन्दिर) ପଟନ ଦରବାର ଛକର (Patan Durbar Square) ୨୦୦ ମିଟର ଉତ୍ତରକୁ ଅବସ୍ଥିତ ଏକ ହିନ୍ଦୁ ମନ୍ଦିର । ଚଉଦ’ଶ ଶତାବ୍ଦୀରେ (ପ୍ରାୟ ୧୩୯୨) ରାଜା ଜୟସ୍ଥିତି ମଲ୍ଲ ନିର୍ମାଣ କରେଇଥିବା ଏହି ମନ୍ଦିର ପଟନର (Patan|) ସବୁଠାରୁ ପୁରୁଣା ମନ୍ଦିର । ଏହା ଦୁଇଟି ୫ ମହଲା ମନ୍ଦିରମାନଙ୍କ ମଧ୍ୟରୁ ଗୋଟିଏ, ଅନ୍ୟଟି ଭକ୍ତପୁରର ନ୍ୟାଟାପୋଲା ମନ୍ଦିର । ସୁନ୍ଦର ଅନୁପାତ ଓ କାଷ୍ଠକଳା ସମ୍ପନ୍ନ ଏହି ମନ୍ଦିର ଶିବଙ୍କୁ ସମର୍ପିତ ହୋଇଛି ଯେହେତୁ ନନ୍ଦୀ ପ୍ରତିମୂର୍ତ୍ତି ମନ୍ଦିରକୁ ମୁଖ କରି ରହିଛି ।
ଅଲାରନାଥ ମନ୍ଦିର ପୁରୀ ଜିଲ୍ଲାର ବ୍ରହ୍ମଗିରିଠାରେ ଅବସ୍ଥିତ ବିଷ୍ଣୁଙ୍କର ଏକ ମନ୍ଦିର । ପୁରୀର ପବିତ୍ର ନରେନ୍ଦ୍ର ପୁଷ୍କରିଣୀଠାରୁ ବାମପାର୍ଶ୍ୱ ପୁରୀ-ସାତପଡ଼ା ରାସ୍ତାରେଜାତୀୟ ରାଜପଥ-୨୦୩(କ)ରେ ୨୦ କି.ମି ଗଲେ ବ୍ରହ୍ମଗିରି । ପାଞ୍ଚ ଏକର ପରିମିତ ଜାଗାରେ କେତକୀ, ବଉଳ ଓ ନାରିକେଳ ଜଙ୍ଗଲ ପରିବେଶ ମଧ୍ୟରେ ୫୦ଫୁଟ ୫ଇଞ୍ଚ ଉଚ୍ଚତା ବିଶିଷ୍ଟ ଶ୍ରୀଅଲାରନାଥଙ୍କ ମନ୍ଦିର ଅବସ୍ଥିତ । ଏହି ମନ୍ଦିର ଚତୁଃପାର୍ଶ୍ୱରେ ଶ୍ରୀଚୈତନ୍ୟ ମନ୍ଦିର, ଶିବ ମନ୍ଦିର ଓ ବିଭିନ୍ନ ଠାକୁରାଣୀଙ୍କ ମନ୍ଦିର, ନବଗ୍ରହ ପ୍ରସ୍ତର, ନାଟମନ୍ଦିର, ପ୍ରାର୍ଥନା ଗୃହ, ଭୋଗମଣ୍ଡପ, ମୁଖଶାଳା, ତଥା ଯଜ୍ଞ ମଣ୍ଡପ ଅବସ୍ଥିତ । ରଥଯାତ୍ରା ପୂର୍ବରୁ ପ୍ରଥମେ ପଡେ ସ୍ନାନଯାତ୍ରା । ଏହି ମହାସ୍ନାନ ପରେ ଶ୍ରୀଜୀଉମାନେ ଲୌକିକ ମତରେ ଭୀଷଣ ଜ୍ୱରରେ ଆକ୍ରାନ୍ତ ହୋଇ ଅଣସର ଘରେ ପଡ଼ିରହନ୍ତି । ଅଣସରର ତାଳତାଟି ଭିତରେ ମହାପ୍ରଭୁଙ୍କ ବଂଶଧର ଭାବେ ପରିଚିତ ଦଇତାପତି ସେବକମାନେ ସେମାନଙ୍କର ସେବାଶୁଶ୍ରୁଷା କରନ୍ତି । ସେହି ସମୟରେ ଭକ୍ତମାନେ ଦୀର୍ଘ ୧୫ଦିନ ଧରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରନ୍ତି ନାହିଁ । ତେଣୁ ଏହି ସମୟରେ ଭକ୍ତମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିନପାରି ବ୍ରହ୍ମଗିରିର ଶ୍ରୀଅଲାରନାଥଙ୍କୁ ଦର୍ଶନ କରି ପୁଣ୍ୟ ଅର୍ଜନ କରିଥାନ୍ତି । ଶ୍ରୀମନ୍ଦିର ରତ୍ନ ସିଂହାସନରେ ଶ୍ରୀଜୀଉଙ୍କୁ ଦର୍ଶନ କରିବାରେ ଯେତିକି ପୂଣ୍ୟ ମିଳେ ଅଣସର ସମୟରେ ଶ୍ରୀଅଲାରନାଥଙ୍କୁ ଦର୍ଶନ କଲେ ସେତିକି ପୂଣ୍ୟ ମିଳେ ବୋଲି ପ୍ରବାଦ ରହିଛି । ତେଣୁ ଅଣସର ସମୟରେ ଅଲାରନାଥ ମନ୍ଦିରରେ ଭକ୍ତମାନଙ୍କ ପ୍ରବଳ ଭିଡ ଲାଗିରହିଥାଏ । ଏହା କୌଣସି ପର୍ଯ୍ୟଟନସ୍ଥଳୀ ନହେଲେ ବି କୃଷ୍ଣଭକ୍ତମାନଙ୍କ ପାଇଁ ଏକ ପ୍ରସିଦ୍ଧ ସ୍ଥାନ । କାରଣ ଭଗବାନ ଅଲାରନାଥ ହେଉଛନ୍ତି ପ୍ରଭୁ ବିଷ୍ଣୁଙ୍କର ଚଳନ୍ତି ପ୍ରତିମା ।
ମନୁ ଦାଶ (ଜନ୍ମ: ୪ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଲେଖକ, ଅନୁବାଦ, ସମ୍ପାଦକ ଓ ପ୍ରକାଶକ । ସେ ଉଭୟ ଇଂରାଜୀ ଓ ଭାଷାରେ ଲେଖାଲେଖି କରନ୍ତି । ସେ କବିତା ସଂଗ୍ରହଠାରୁ ଆରମ୍ଭ କରି ସଂଗୀତ ଓ ଅନୁବାଦ ଆଦିରେ ୪୦ରୁ ଅଧିକ ପୁସ୍ତକ ଲେଖିଛନ୍ତି, ସମ୍ପାଦନା ଓ ଅନୁବାଦ କରିଛନ୍ତି । ତାଙ୍କ କବିତା ହିନ୍ଦୀ, ଅହମିୟା, କନ୍ନଡ଼, ମାଲାୟଲମ, ଉର୍ଦ୍ଦୁ, ଜର୍ମାନୀ ଓ ସ୍ଲୋଭେନ ସମେତ ବିଭିନ୍ନ ଭାରତୀୟ ତଥା ବିଦେଶୀ ଭାଷାରେ ଅନୁବାଦ ହୋଇ ପ୍ରକାଶିତ ହୋଇଛି ।
ସଞ୍ଜିବ କୁମାର ପ୍ରଧାନ (ଜନ୍ମ: ୧୩ ଜୁନ ୧୯୬୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଦେବଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କାଳିଜାଇ ମନ୍ଦିର ଓଡ଼ିଶାର ଚିଲିକା ହ୍ରଦର ଏକ ଛୋଟ ଦ୍ୱୀପ ମଧ୍ୟରେ ଅବସ୍ଥିତ। ନୀଳ ଜଳର ଚଦରରେ ଆବୃତ ହୋଇ ଥିବା ଏହି ପବିତ୍ର ସ୍ଥାନ ଓଡ଼ିଶା ପର୍ଯ୍ୟଟନର ଏକ ଐତିହାସିକ କିମ୍ବଦନ୍ତୀ ଭାବେ ଜଣାଶୁଣା। ପ୍ରାୟ ୨୯ ଏକର ପାହାଡରେ ପରିପୂର୍ଣ୍ଣ ଏ ଦ୍ୱୀପରେ ମା’ କାଳିଜାଇ ପୂଜା ପାଉଛନ୍ତି । କାଳିଜାଇ ଚିଲିକାର ଏକ ସ୍ୱତନ୍ତ୍ର ଆକର୍ଷଣ । ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଏଠାକୁ ମା’ଙ୍କ ଦର୍ଶନ ପାଇଁ ଆସିଥନ୍ତି । ମକର ସଂକ୍ରାନ୍ତିରେ କାଳିଜାଇ ପୀଠରେ ପ୍ରସିଦ୍ଧ ମକରମେଳା ଅନୁଷ୍ଠିତ ହୁଏ । ଜାନୁଆରୀ ମାସରେ ପଡୁଥିବା ମକରମେଳା ଏଠାକାର ଏକମାତ୍ର ଲୋକପ୍ରିୟ ପର୍ବ । ଏହି ପର୍ବରେ ଆଖପାଖ ଅଞ୍ଛଳର ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ସାବରମତୀ ଆଶ୍ରମ, ଭାରତର ପଶ୍ଚିମଭାଗରେ ଅବସ୍ଥିତ ଗୁଜରାଟରାଜ୍ୟର ଅହମଦାବାଦ ଜିଲ୍ଲାର ସାବରମତୀ ନଦୀ କୂଳରେ ଅବସ୍ଥିତ ଏକ ଐତିହାସିକ ଆଶ୍ରମ । ସତ୍ୟାଗ୍ରହ ଆଶ୍ରମ ନାମରେ ପ୍ରସିଦ୍ଧ ଏହି ଆଶ୍ରମର ସ୍ଥାପନା ୧୯୧୭ ମସିହାରେ ମହାତ୍ମା ଗାନ୍ଧୀଙ୍କଦ୍ୱାରା ଅହମଦାବାଦର ପାଲଡିସ୍ଥିତ କୋଚରବ ଆଶ୍ରମଠାରେ ସ୍ଥାପିତ ହୋଇଥିଲା। ୧୯୫୭ ମସିହାରେ ବର୍ତ୍ତମାନସ୍ଥିତ ସାବରମତୀ ନଦୀ କୂଳକୁ ସ୍ଥାନାନ୍ତରିତ କରାଯାଇଥିଲା ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମୁଦ୍ରା ଦେବାରାଧନା ସମୟରେ କରାଙ୍ଗୁଳିଦ୍ୱାରା ରଚିତ ଭଙ୍ଗୀ ବିଶେଷ । ଦେବତାମାନେ ଏହି ମୁଦ୍ରାମାନଙ୍କଦ୍ୱାରା ମୁଦିତ ହେବା ୟୋଗୁଁ ଏହା ମୁଦ୍ରା ନାମରେ ଖ୍ୟାତ ହାତର ଆଙ୍ଗୁଠି ମାନଙ୍କୁଦ୍ୱାରା ଭିନ୍ନ ଭିନ୍ନ ରୂପ ଓ ଆକୃତି ରଚନା କରି 'ମୁଦ୍ରା' କରାଯାଏ ଓ ପୂଜା ସମରେ ଉକ୍ତରୂପ ମୁଦ୍ରାକୁ ଦେବତାଙ୍କୁ ଦେଖାଇବାକୁ ହୁଏ । ଭିନ୍ନ ଭିନ୍ନ ଦେବତାଙ୍କର ପୂଜା ପାଇଁ ଭିନ୍ନ ଭିନ୍ନ ମୁଦ୍ରାର ବ୍ୟବସ୍ଥା ଅଛି ତନ୍ତ୍ର ଓ ପୁରାଣମାନଙ୍କରେ ନାନା ପ୍ରକାର ମୁଦ୍ରାର ବର୍ଣ୍ଣନା ଅଛି ଏବଂ ମୁଦ୍ରାର ରଚନା ସମ୍ବନ୍ଧରେ ଉପଦେଶ ଓ ମୁଦ୍ରାମାନଙ୍କର ବିଶିଷ୍ଟ ପ୍ରୟୋଗମାନ ଲିପିବଦ୍ଧ ହୋଇଛି । ପ୍ରତ୍ୟେକ ପ୍ରକାର ସାଧାରଣ ପୂଜାରେ ନଅ ଗୋଟି ମୁଦ୍ରା କିମ୍ବା ଷଡ଼ଙ୍ଗ ମୁଦ୍ରା ଦେଖାଇବାକୁ ହୁଏ ବିଷ୍ଣୁ ପୂଜାରେ ୨୯ ଗୋଟି ଶିବ ପୂଜାରେ ୧ ଗୋଟି, ସୂର୍ଯ୍ୟପୂଜାରେ ଗୋଟିଏ; ଗଣେଶଙ୍କର ୭ ଗୋଟି; ଶକ୍ତି ବା ଦୁର୍ଗାଙ୍କର ୯ ଗୋଟି, ଏହିପରି ଭିନ୍ନ ଭିନ୍ନ ଦେବତାଙ୍କ ପୂଜାରେ ଓ ଜପରେ ଭିନ୍ନ ଭିନ୍ନ ମୁଦ୍ରାମାନ ପ୍ରଯୋଗ କରାଯାଏ । କାଳିକା ପୁରାଣରେ ୬୫ ଅଧ୍ୟାୟରେ ବହୁଶତ ମୁଦ୍ରାର ବର୍ଣ୍ଣନା ଅଛି । କେତେଗୁଡ଼ିଏ ମୁଦ୍ରାର ନାମ ଯଥା: ଆବାହନ, ସଂସ୍ଥାପନ; ସନ୍ନିରୋଧନ; ଧେନୁ ମହା ମୁଦ୍ରା; ଅବଗୁଣ୍ଠନ; ଶଙ୍ଖ; ଚକ୍ର; ପଦ୍ନ; ଗଦା; ନାରାଗ; ଅଙ୍କୁଶ; ତ୍ରିଶୂଳ, ଲିଙ୍ଗ; ୟୋନି; ମତ୍ସ୍ୟ; କର୍ମ; ବରାହ; ନରସିଂହ; ମୃଗ; ଶାଳିନୀ; ଲେଲିହା; ସନ୍ନିଧାପନ, ସଂବୋଧନ, ବର ଅଭଯ; ସ୍ଥାପନୀ 'ପରଚେ ଗୀତା'ର ଦ୍ୱାଦଂଶ ଅଧ୍ୟାୟରେ ଚଚେରି, ଭୂଚରୀ, ତନୁମୁନା, ଖେଚରୀ ଓ ଗୋଚରୀ ନାମରେ ପାଞ୍ଚ ପ୍ରକାର ମୁଦ୍ରାର ଉଲ୍ଲେଖ ଦେଖାଯାଏ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ନିମ୍କି, ୨୦୧୯ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ କୁନା ମଙ୍ଗରାଜ ଓ ବର୍ଷା ପ୍ରିୟଦର୍ଶିନୀ । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ବର୍ଷା ପ୍ରିୟଦର୍ଶିନୀ । ଦିଲୀପ ଚୈଧୁରୀ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ସୁଶାନ୍ତ ମଣି ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମୁଖପକ୍ଷାଘାତ (ଇଂରାଜୀ ଭାଷାରେ ବେଲ୍ସ ପାଲ୍ସି/Bell's palsy) ଏକ ମୁଖସ୍ନାୟୁ ପକ୍ଷାଘାତ (facial paralysis) ରୋଗ ଯାହା ଫଳରେ ରୋଗୀ ନିଜର ମୁଖମଣ୍ଡଳର ମାଂସପେଶୀମାନଙ୍କୁ ନିୟନ୍ତ୍ରଣ କରିବାକୁ ଅକ୍ଷମ ହୁଏ । ଏହାର ଲକ୍ଷଣ ସାମାନ୍ୟରୁ ସାଂଘାତିକ ହୋଇପାରେ । ଏହି ଲକ୍ଷଣ ମଧ୍ୟରେ ମାଂସପେଶୀ ସ୍ଫୁରଣ (twitch), ଦୁର୍ବଳ ଓ ଗୋଟିଏ ପାଖ ବା ଉଭୟ ପାଖ ଚଳନ କରିବାକୁ ଅକ୍ଷମ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଆଖିପତା ଝୁଲିପଡ଼େ (drooping of the eyelid), ସ୍ୱାଦ ପରିବର୍ତ୍ତିତ ହୁଏ, କାନ ଚାରିପାଖରେ ଯନ୍ତ୍ରଣା ହୁଏ ଓ ଅଧିକ ଜୋରରେ ଶବ୍ଦ ଶୁଣାଯାଇପାରେ । ସ୍ୱାଭାବିକ ଭାବରେ ଏହାର ଲକ୍ଷଣ ୪୮ଘଣ୍ଟାରେ ପ୍ରକାଶ ପାଏ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ୱନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।